Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2026 › ନଭେମ୍ବର 22

ଅର୍ଥୋଡକ୍ସ ପଞ୍ଜିକା · 9 ନଭେମ୍ବର (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 22 ନଭେମ୍ବର 2026

ରବିବାର · ସ୍ୱର 8

ପର୍ବ ଓ ସନ୍ଥ

ପେଣ୍ଟିକଷ୍ଟ ପରେ 25ତମ ରବିବାର

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପ୍ରଭାତୀ ପ୍ରାର୍ଥନାର ତୃତୀୟ ସୁସମାଚାର

ମାର୍କ 16:9–20

9[ସପ୍ତାହର ପ୍ରଥମ ଦିବସ ପ୍ରତ୍ୟୁଷରେ ଯୀଶୁ ପୁନରୁତ୍ଥାନ କରି, ଯାହାଙ୍କଠାରୁ ସାତ ଭୂତ ଛଡ଼ାଇଥିଲେ, ସେହି ମଗ୍‌ଦଲୀନୀ ମରୀୟମଙ୍କୁ ପ୍ରଥମରେ ଦର୍ଶନ ଦେଲେ। 10ସେ ଯାଇ, ଯେଉଁମାନେ ତାହାଙ୍କ ସଙ୍ଗୀ ହୋଇଥିଲେ, ସେମାନଙ୍କୁ ସମ୍ବାଦ ଦେଲେ; ସେମାନେ ଶୋକ ଓ ରୋଦନ କରୁଥିଲେ। 11ଯୀଶୁ ଯେ ଜୀବିତ ଅଟନ୍ତି ଓ ତାହାଙ୍କୁ ଦର୍ଶନ ଦେଇଅଛନ୍ତି, ଏହା ଶୁଣି ସେମାନେ ବିଶ୍ୱାସ କଲେ ନାହିଁ। 12ଏହି ସମସ୍ତ ଘଟଣା ଉତ୍ତାରେ ସେମାନଙ୍କ ମଧ୍ୟରୁ ଦୁଇ ଜଣ ଗୋଟିଏ ପଲ୍ଲୀଗ୍ରାମକୁ ଯାଉଥିବା ସମୟରେ ସେ ଅନ୍ୟ ରୂପରେ ସେମାନଙ୍କୁ ଦର୍ଶନ ଦେଲେ, 13ପୁଣି, ସେମାନେ ଯାଇ ଅନ୍ୟମାନଙ୍କୁ ସମ୍ବାଦ ଦେଲେ; କିନ୍ତୁ ସେମାନଙ୍କ କଥା ସୁଦ୍ଧା ସେମାନେ ବିଶ୍ୱାସ କଲେ ନାହିଁ। 14ଏଥିଉତ୍ତାରେ ଏଗାର ଜଣ ଶିଷ୍ୟମାନେ ଭୋଜନରେ ବସିଥିବା ସମୟରେ ସେ ସେମାନଙ୍କୁ ଦର୍ଶନ ଦେଲେ ଏବଂ ସେମାନଙ୍କର ଅବିଶ୍ୱାସ ଓ ହୃଦୟର କଠିନତା ହେତୁ ସେମାନଙ୍କୁ ଅନୁଯୋଗ କଲେ, କାରଣ ଯେଉଁମାନେ ତାହାଙ୍କୁ ପୁନରୁତ୍ଥିତ ଦେଖିଲେ, ସେମାନଙ୍କ କଥା ସେମାନେ ବିଶ୍ୱାସ କରି ନ ଥିଲେ। 15ପୁଣି, ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସମୁଦାୟ ଜଗତକୁ ଯାଇ ସମସ୍ତ ମାନବଜାତି ନିକଟରେ ସୁସମାଚାର ଘୋଷଣା କର। 16ଯେ ବିଶ୍ୱାସ କରେ ଏବଂ ବାପ୍ତିଜିତ ହୁଏ, ସେ ପରିତ୍ରାଣ ପାଇବ; କିନ୍ତୁ ସେ ବିଶ୍ୱାସ କରେ ନାହିଁ, ସେ ଦଣ୍ଡାଜ୍ଞା ପାଇବ। 17ଆଉ ଏହିସବୁ ଚିହ୍ନ ସେମାନଙ୍କର ଅନୁବର୍ତ୍ତୀ ହେବ ଯେଉଁମାନେ ତାହାଙ୍କଠାରେ ବିଶ୍ୱାସ କରନ୍ତି, ସେମାନେ ମୋ ନାମରେ ଭୂତ ଛଡ଼ାଇବେ, ନୂତନ ନୂତନ ଭାଷାରେ କଥା କହିବେ, ହସ୍ତରେ ସର୍ପ ଧରିବେ, 18ପୁଣି, ପ୍ରାଣନାଶକ କୌଣସି ପଦାର୍ଥ ପାନ କଲେ ସେମାନଙ୍କର କିଛି କ୍ଷତି ହେବ ନାହିଁ; ସେମାନେ ପୀଡ଼ିତମାନଙ୍କ ଉପରେ ହସ୍ତ ଥୋଇଲେ ସେମାନେ ସୁସ୍ଥ ହେବେ।” 19ଏହି ରୂପେ ପ୍ରଭୁ ଯୀଶୁ ସେମାନଙ୍କୁ କଥା କହିବା ପରେ ସ୍ୱର୍ଗରେ ଗୃହୀତ ହୋଇ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ବସିଲେ। 20କିନ୍ତୁ ସେମାନେ ପ୍ରସ୍ଥାନ କରି ସର୍ବତ୍ର ପ୍ରଚାର କଲେ, ଆଉ ପ୍ରଭୁ ସେମାନଙ୍କର ସହକର୍ମୀ ହୋଇ ଅନୁବର୍ତ୍ତୀ ଚିହ୍ନଗୁଡ଼ିକ ଦ୍ୱାରା ସେହି ବାକ୍ୟ ପ୍ରମାଣସିଦ୍ଧ କଲେ।]

ପତ୍ର

ଏଫି 4:1–6

1ଅତଏବ ପ୍ରଭୁଙ୍କ ହେତୁ ବନ୍ଦୀ ଯେ ମୁଁ, ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ତୁମ୍ଭେମାନେ ଯେଉଁ ଆହ୍ୱାନରେ ଅାହୂତ ହୋଇଅଛ, ସେଥିର ଯୋଗ୍ୟ ଆଚରଣ କର, 2ଅର୍ଥାତ୍‍ ସର୍ବପ୍ରକାର ନମ୍ରତା, ମୃଦୁତା, ଦୀର୍ଘ ସହିଷ୍ଣୁତା ଓ ପ୍ରେମରେ ପରସ୍ପର ପ୍ରତି ସହନଶୀଳ ହୁଅ; 3ଶାନ୍ତିରୂପ ବନ୍ଧନରେ ବାନ୍ଧି ହୋଇ ଆତ୍ମାଙ୍କ ଐକ୍ୟ ରକ୍ଷା କରିବା ନିମନ୍ତେ ଯତ୍ନବାନ ହୁଅ। 4ଏକ ଶରୀର ଓ ଏକ ଆତ୍ମା, ଯେଉଁ ରୂପେ ତୁମ୍ଭେମାନେ ତୁମ୍ଭମାନଙ୍କ ଆହ୍ୱାନର ଏକ ଭରସାରେ ମଧ୍ୟ ଆହୂତ ହୋଇଅଛ; 5ଏକ ପ୍ରଭୁ, ଏକ ବିଶ୍ୱାସ, ଏକ ବାପ୍ତିସ୍ମ, ସମସ୍ତଙ୍କ ଏକ ଈଶ୍ବର ଓ ପିତା; 6ସେ ସମସ୍ତଙ୍କ ଉପରେ, ସମସ୍ତଙ୍କ ମଧ୍ୟରେ ଏବଂ ସମସ୍ତଙ୍କ ଅନ୍ତରରେ ଅଛନ୍ତି।

ସୁସମାଚାର

ଲୂକ 8:41–56

41ଆଉ, ଦେଖ, ଯାଈରସ ନାମକ ଜଣେ ବ୍ୟକ୍ତି ଆସିଲେ; ସେ ସମାଜଗୃହର ଅଧ୍ୟକ୍ଷ ଥିଲେ। ସେ ଯୀଶୁଙ୍କ ପାଦ ତଳେ ପଡ଼ି ଆପଣା ଗୃହକୁ ଆସିବା ନିମନ୍ତେ ତାହାଙ୍କୁ ବିନତି କଲେ, 42କାରଣ ତାହାଙ୍କର ପ୍ରାୟ ବାର ବର୍ଷ ବୟସର ଏକମାତ୍ର କନ୍ୟା ଥିଲା, ଆଉ ସେ ମୃତପ୍ରାୟ ହୋଇଥିଲା। କିନ୍ତୁ ସେ ଯାଉଥିବା ସମୟରେ ଲୋକସମୂହ ତାହାଙ୍କ ଉପରେ ମାଡ଼ିପଡ଼ୁଥିଲେ। 43ସେତେବେଳେ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗରେ ଜଣେ ସ୍ତ୍ରୀଲୋକ, ଯେ ସମସ୍ତ ପୁଞ୍ଜି ସୁସ୍ଥ ହେବା ପାଇଁ ବୈଦ୍ୟମାନଙ୍କଠାରେ ଖର୍ଚ୍ଚ କରିଥିଲା କିନ୍ତୁ ସୁସ୍ଥ ହୋଇପାରି ନ ଥିଲା, 44ସେ ପଛଆଡ଼ୁ ଆସି ତାହାଙ୍କ ବସ୍ତ୍ରର ଝୁମ୍ପା ଛୁଇଁଲା, ଆଉ, ସେହିକ୍ଷଣି ତାହାର ରକ୍ତସ୍ରାବ ବନ୍ଦ ହେଲା। 45ସେଥିରେ ଯୀଶୁ କହିଲେ, “କିଏ ମୋତେ ଛୁଇଁଲା?” ମାତ୍ର ସମସ୍ତେ ଅସ୍ୱୀକାର କରନ୍ତେ, ପିତର କହିଲେ, ହେ ଗୁରୁ, ଲୋକସମୂହ ଯନ୍ତାଯନ୍ତି ହୋଇ ଆପଣଙ୍କ ଉପରେ ମାଡ଼ିପଡ଼ୁଅଛନ୍ତି। 46କିନ୍ତୁ ଯୀଶୁ କହିଲେ, “କେହି ଜଣେ ମୋତେ ଛୁଇଁଲା, କାରଣ ମୋʼଠାରୁ ଶକ୍ତି ବାହାରିଗଲା ବୋଲି ମୁଁ ଜାଣିଲି।” 47ଯେତେବେଳେ ସ୍ତ୍ରୀଲୋକଟି ଦେଖିଲା ଯେ, ସେ ଲୁଚି ରହି ପାରିଲା ନାହିଁ, ସେତେବେଳେ ସେ ଥରି ଥରି ଆସି ତାହାଙ୍କ ପାଦ ତଳେ ପଡ଼ି, କାହିଁକି ତାହାଙ୍କୁ ଛୁଇଁଲା ପୁଣି, କିପରି ସେହିକ୍ଷଣି ସୁସ୍ଥ ହେଲା, ତାହା ସମସ୍ତ ଲୋକଙ୍କ ସାକ୍ଷାତରେ ପ୍ରକାଶ କଲା। 48ସେଥିରେ ଯୀଶୁ ତାହାଙ୍କୁ କହିଲେ, “ଝିଅ, ତୋହର ବିଶ୍ୱାସ ତୋତେ ସୁସ୍ଥ କରିଅଛି, ଶାନ୍ତିରେ ଚାଲିଯା।” 49ସେ ଏହି କଥା କହୁଥିବା ସମୟରେ ସମାଜଗୃହର ଅଧ୍ୟକ୍ଷଙ୍କ ଘରୁ ଜଣେ ଆସି କହିଲା, ଆପଣଙ୍କ ଝିଅ ମରିଗଲାଣି, ଗୁରୁଙ୍କୁ ଆଉ କଷ୍ଟ ଦିଅନ୍ତୁ ନାହିଁ। 50କିନ୍ତୁ ଯୀଶୁ ଏହା ଶୁଣି ତାହାଙ୍କୁ ଉତ୍ତର ଦେଲେ, “ଭୟ କର ନାହିଁ କେବଳ ବିଶ୍ୱାସ କର, ଆଉ ସେ ବଞ୍ଚିବ।” 51ପୁଣି, ସେ ଗୃହକୁ ଆସି ପିତର, ଯୋହନ ଓ ଯାକୁବ, ପୁଣି, ବାଳିକାର ପିତାମାତାଙ୍କ ବିନା ଆଉ କାହାକୁ ଆପଣା ସାଙ୍ଗରେ ଭିତରକୁ ଯିବା ପାଇଁ ଦେଲେ ନାହିଁ। 52ମାତ୍ର ସମସ୍ତେ ତାହା ପାଇଁ ରୋଦନ କରୁ କରୁ ଛାତିରେ ମାରିହେଉଥିଲେ। ସେଥିରେ ସେ କହିଲେ, “ରୋଦନ କର ନାହିଁ; ସେ ମରି ନାହିଁ, ମାତ୍ର ଶୋଇପଡ଼ିଅଛି।” 53କିନ୍ତୁ ସେ ମରିଯାଇଅଛି ବୋଲି ଜାଣିଥିବାରୁ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ। 54ମାତ୍ର ସେ ତାହାର ହାତ ଧରି ଡାକି କହିଲେ, “ଆଗୋ ବାଳିକା, ଉଠ।” 55ସେଥିରେ ତାହାର ଆତ୍ମା ଫେରିଆସିଲା ଆଉ ସେ ସେହିକ୍ଷଣି ଉଠିଲା, ପୁଣି, ସେ ତାହାକୁ କିଛି ଖାଇବାକୁ ଦେବା ପାଇଁ ଆଜ୍ଞା ଦେଲେ। 56ଏଥିରେ ତାହାର ପିତାମାତା ଆଚମ୍ଭିତ ହେଲେ; କିନ୍ତୁ ସେହି ଘଟଣାର କଥା କାହାକୁ ନ କହିବା ପାଇଁ ସେ ସେମାନଙ୍କୁ ଆଜ୍ଞା ଦେଲେ।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ନଭେମ୍ବର 9 ନାଗରିକ ପଞ୍ଜିକାର ନଭେମ୍ବର 22। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର