Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2026 › ନଭେମ୍ବର 23

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 23 ନଭେମ୍ବର 2026

ସୋମବାର · ସାଧାରଣ କାଳର 34ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 34ତମ ସପ୍ତାହର ସୋମବାର

ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ

ସନ୍ଥ କ୍ଲେମେଣ୍ଟ ପ୍ରଥମ, ପୋପ୍ ଓ ଶହୀଦ · ଇଚ୍ଛାଧୀନ ସ୍ମୃତି ଦିବସ

ସନ୍ଥ କଲମ୍ବାନ୍, ମଠାଧ୍ୟକ୍ଷ · ଇଚ୍ଛାଧୀନ ସ୍ମୃତି ଦିବସ

ଦିନର ପାଠ

ପ୍ରଥମ ପାଠ

ପ୍ରକା 14:1–5

1ତତ୍ପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସିୟୋନ ପର୍ବତ ଉପରେ ମେଷଶାବକ ଆଉ ଯେଉଁମାନଙ୍କ କପାଳରେ ତାହାଙ୍କ ନାମ ଓ ତାହାଙ୍କ ପିତାଙ୍କ ନାମ ଲିଖିତ ଥିଲା, ଏପରି ଏକ ଲକ୍ଷ ଚୌରାଳିଶ ହଜାର ଲୋକଙ୍କୁ ତାହାଙ୍କ ସହିତ ଦଣ୍ଡାୟମାନ ଥିବାର ଦେଖିଲି। 2ପୁଣି, ମୁଁ ସ୍ୱର୍ଗରୁ ବହୁବନ୍ୟାଜଳ ଓ ମହାବଜ୍ରନାଦ ତୁଲ୍ୟ ଗୋଟିଏ ସ୍ୱର ଶୁଣିଲି; ଯେଉଁ ସ୍ୱର ମୁଁ ଶୁଣିଲି, ତାହା ବୀଣାବାଦକମାନଙ୍କ ବୀଣାର ଶଦ୍ଦ ପରି। 3ସେମାନେ ସିଂହାସନ, ଚାରି ପ୍ରାଣୀ ଓ ପ୍ରାଚୀନମାନଙ୍କ ସମ୍ମୁଖରେ ଗୋଟିଏ ନୂତନ ଗୀତ ଗାନ କଲେ, ପୁଣି, ପୃଥିବୀରୁ କ୍ରୀତ ସେହି ଏକ ଲକ୍ଷ ଚୌରାଳିଶ ହଜାର ଲୋକଙ୍କ ବିନା ଆଉ କେହି ସେ ଗୀତ ଶିଖି ପାରିଲେ ନାହିଁ। 4ସେମାନେ ସ୍ତ୍ରୀମାନଙ୍କ ସହିତ ଆପଣା ଆପଣାକୁ କଳୁଷିତ କରି ନ ଥିଲେ କାରଣ ସେମାନେ ଶୁଚି କରି ରଖିଥିଲେ। ମେଷଶାବକ ଯେକୌଣସି ସ୍ଥାନକୁ ଗମନ କରନ୍ତି, ସେ ସ୍ଥାନକୁ ସେମାନେ ତାହାଙ୍କର ଅନୁଗାମୀ ହୁଅନ୍ତି। ସେମାନେ ଈଶ୍ବର ଓ ମେଷଶାବକଙ୍କ ଉଦ୍ଦେଶ୍ୟରେ ପ୍ରଥମଜାତ ଫଳ ସ୍ୱରୂପେ ମନୁଷ୍ୟମାନଙ୍କ ମଧ୍ୟରୁ କ୍ରୀତ ହୋଇଅଛନ୍ତି; 5ସେମାନଙ୍କ ମୁଖରେ କୌଣସି ମିଥ୍ୟାକଥା ନାହିଁ, ସେମାନେ ନିର୍ଦ୍ଦୋଷ।

ପ୍ରତିଉତ୍ତର ଗୀତ

ଗୀତ 24:1–6

1ଦାଉଦଙ୍କର ଗୀତ। ପୃଥିବୀ ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ସଦାପ୍ରଭୁଙ୍କର। 2କାରଣ ସେ ସମୁଦ୍ର ଉପରେ ତାହା ସ୍ଥାପନ କରିଅଛନ୍ତି ଓ ନଦୀ ଉପରେ ତାହା ଦୃଢ଼ କରିଅଛନ୍ତି। 3କିଏ ସଦାପ୍ରଭୁଙ୍କ ପର୍ବତରେ ଆରୋହଣ କରିବ? ଓ କିଏ ତାହାଙ୍କ ପବିତ୍ର ସ୍ଥାନରେ ଠିଆ ହେବ? 4ଯାହାର ହସ୍ତ ଶୁଚି ଓ ଅନ୍ତଃକରଣ ନିର୍ମଳ; ଯାହାର ମନ ଅସାରତା ପ୍ରତି ଉଠି ନାହିଁ, ପୁଣି, ଯେ ଛଳ ଭାବରେ ଶପଥ କରି ନାହିଁ, ସେ। 5ସେ ସଦାପ୍ରଭୁଙ୍କଠାରୁ ଆଶୀର୍ବାଦ ଓ ଆପଣାର ପରିତ୍ରାଣ ସ୍ୱରୂପ ପରମେଶ୍ୱରଙ୍କଠାରୁ ଧାର୍ମିକତା ପ୍ରାପ୍ତ ହେବ। 6ଯେଉଁମାନେ ପରମେଶ୍ୱରଙ୍କୁ ଅନ୍ୱେଷଣ କରନ୍ତି, ସେମାନଙ୍କର ବଂଶ ଏହି, ହେ ଯାକୁବର ପରମେଶ୍ୱର, ଏମାନେ ତୁମ୍ଭର ମୁଖ ଅନ୍ୱେଷଣ କରନ୍ତି। [ସେଲା]

ସୁସମାଚାର

ଲୂକ 21:1–4

1ଏହାପରେ ଯୀଶୁ ଦୃଷ୍ଟିପାତ କରି ଧନୀ ଲୋକମାନଙ୍କୁ ଭଣ୍ଡାରରେ ନିଜ ନିଜର ଦାନ ପକାଉଥିବା ଦେଖିଲେ। 2ଆଉ ସେ ଜଣେ ଦରିଦ୍ର ବିଧବାକୁ ସେଥିରେ ଦୁଇଟି କ୍ଷୁଦ୍ର ମୁଦ୍ରା ପକାଉଥିବା ଦେଖି କହିଲେ, 3“ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ଦରିଦ୍ର ବିଧବା ସମସ୍ତଙ୍କଠାରୁ ଅଧିକ ପକାଇଅଛି, 4କାରଣ ଧନୀମାନେ ଦାନ ସଂଗ୍ରହ ବାକ୍ସରେ ନିଜ ନିଜର ବଳକା ଧନରୁ କିଛି କିଛି ପକାଇଲେ, କିନ୍ତୁ ଦରିଦ୍ର ବିଧବା ନିଜର ଅଭାବ ଅବସ୍ଥାରେ ନିଜ ପ୍ରାଣ ବଞ୍ଚାଇବା ନିମନ୍ତେ ଯାହା କିଛି ଥିଲା, ସେହିସବୁ ପକାଇଲା।”

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର A, ସପ୍ତାହ ଦିନର ବର୍ଷ II।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର