ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2026 › ନଭେମ୍ବର 25
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 25 ନଭେମ୍ବର 2026
ବୁଧବାର · ସାଧାରଣ କାଳର 34ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 34ତମ ସପ୍ତାହର ବୁଧବାର
ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ
ଆଲେକଜାଣ୍ଡ୍ରୀୟର ସନ୍ଥ କ୍ୟାଥେରିନ୍, କୁମାରୀ ଓ ଶହୀଦ · ଇଚ୍ଛାଧୀନ ସ୍ମୃତି ଦିବସ
ଦିନର ପାଠ
ପ୍ରଥମ ପାଠ
1ତତ୍ପରେ ମୁଁ ସ୍ୱର୍ଗରେ ଆଉ ଏକ ମହା ଅଦ୍ଭୁତ ଚିହ୍ନ ଦେଖିଲି, ସପ୍ତ ଦୂତ, ସେମାନଙ୍କ ହସ୍ତରେ ସପ୍ତ କ୍ଲେଶ, ଏହା ହିଁ ଶେଷ, କାରଣ ଏହି କ୍ଲେଶମାନଙ୍କରେ ଈଶ୍ବରଙ୍କ କ୍ରୋଧ ସମାପ୍ତ। 2ଆଉ ମୁଁ ଦେଖିଲି ଯେପରି ଅଗ୍ନିମିଶ୍ରିତ ଗୋଟିଏ କାଚମୟ ସମୁଦ୍ର, ପୁଣି, ଯେଉଁମାନେ ପଶୁ, ତାହାର ପ୍ରତିମା ଓ ତାହା ନାମର ସଂଖ୍ୟା ଉପରେ ବିଜୟୀ ହୋଇଅଛନ୍ତି, ସେମାନେ ଈଶ୍ବରଙ୍କ ବୀଣା ଧରି, ସେହି କାଚମୟ ସମୁଦ୍ର ତୀରରେ ଦଣ୍ଡାୟମାନ ହୋଇଅଛନ୍ତି। 3ସେମାନେ ଈଶ୍ବରଙ୍କ ଦାସ ମୋଶା ଓ ମେଷଶାବକଙ୍କ ଗୀତ ଗାନ କରି କହୁଅଛନ୍ତି, “ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ବର, ତୁମ୍ଭର କର୍ମସମୂହ ମହତ ଓ ଆଶ୍ଚର୍ଯ୍ୟ; ହେ ଜାତିସମୂହର ରାଜା, ତୁମ୍ଭର ପଥସମସ୍ତ ନ୍ୟାୟ ଓ ସତ୍ୟ। 4ହେ ପ୍ରଭୁ, କିଏ ତୁମ୍ଭକୁ ଭୟ ନ କରିବ? କିଏ ତୁମ୍ଭ ନାମର ଗୌରବ କୀର୍ତ୍ତନ ନ କରିବ? କାରଣ କେବଳ ତୁମ୍ଭେ ହିଁ ପବିତ୍ର; ଜାତିସମୂହ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ, ଯେଣୁ ତୁମ୍ଭର ନ୍ୟାୟ କର୍ମସମୂହ ପ୍ରକାଶିତ ହୋଇଅଛି।”
ପ୍ରତିଉତ୍ତର ଗୀତ
1ଗୀତ। ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; କାରଣ ସେ ଆଶ୍ଚର୍ଯ୍ୟକର୍ମ କରିଅଛନ୍ତି; ତାହାଙ୍କ ଦକ୍ଷିଣ ହସ୍ତ ଓ ତାହାଙ୍କ ପବିତ୍ର ବାହୁ ତାହାଙ୍କ ପକ୍ଷରେ ପରିତ୍ରାଣ ସାଧନ କରିଅଛି। 2ସଦାପ୍ରଭୁ ଆପଣା ପରିତ୍ରାଣ ଜଣାଇ ଅଛନ୍ତି; ସେ ଅନ୍ୟ ଦେଶୀୟମାନଙ୍କ ଦୃଷ୍ଟିଗୋଚରରେ ଆପଣା ଧର୍ମ ପ୍ରକାଶ କରିଅଛନ୍ତି। 3ସେ ଇସ୍ରାଏଲ ବଂଶ ପକ୍ଷରେ ଆପଣା ଦୟା ଓ ବିଶ୍ୱସ୍ତତା ସ୍ମରଣ କରିଅଛନ୍ତି; ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିତ୍ରାଣ ଦେଖିଅଛନ୍ତି। 7ସମୁଦ୍ର ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ଗର୍ଜ୍ଜନ କରନ୍ତୁ; 8ନଦ-ନଦୀଗଣ କରତାଳି ଦେଉନ୍ତୁ; ପର୍ବତଗଣ ଏକ ସଙ୍ଗେ ଆନନ୍ଦଗାନ କରନ୍ତୁ; 9ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରନ୍ତୁ, କାରଣ ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ନ୍ୟାୟରେ ଗୋଷ୍ଠୀବର୍ଗର ବିଚାର କରିବେ।
ସୁସମାଚାର
12କିନ୍ତୁ ଏହି ସମସ୍ତ ଘଟଣା ପୂର୍ବେ ଲୋକମାନେ ତୁମ୍ଭମାନଙ୍କୁ ଧରିବେ ଏବଂ ସମାଜଗୃହ ଓ କାରାଗାରରେ ତୁମ୍ଭମାନଙ୍କୁ ସମର୍ପଣ କରି ତାଡ଼ନା କରିବେ, ଆଉ ମୋ ନାମ ସକାଶେ ତୁମ୍ଭେମାନେ ରାଜା ଓ ଶାସନକର୍ତ୍ତାମାନଙ୍କ ନିକଟକୁ ନିଆଯିବ; 13ଏହା ତୁମ୍ଭମାନଙ୍କ ସପକ୍ଷରେ ସାକ୍ଷ୍ୟ ହେବ। 14ଅତଏବ କଅଣ ଉତ୍ତର ଦେବ, ସେ ବିଷୟରେ ପୂର୍ବରୁ ଚିନ୍ତା ନ କରିବାକୁ ଆପଣା ଆପଣା ମନରେ ସ୍ଥିର କର; 15କାରଣ ମୁଁ ତୁମ୍ଭମାନଙ୍କୁ ଏପରି ବାକ୍ୟ ଓ ଜ୍ଞାନ ଦେବି ଯେ, ତୁମ୍ଭମାନଙ୍କର ସମସ୍ତ ବିପକ୍ଷ ଲୋକ ସେଥିର ପ୍ରତିରୋଧ ବା ପ୍ରତିବାଦ କରିପାରିବେ ନାହିଁ। 16କିନ୍ତୁ ତୁମ୍ଭେମାନେ ପିତାମାତା, ଭାଇ, ସମ୍ପର୍କୀୟ ଓ ବନ୍ଧୁମାନଙ୍କ ଦ୍ୱାରା ସୁଦ୍ଧା ସମର୍ପିତ ହେବ, ଆଉ ତୁମ୍ଭମାନଙ୍କ ମଧ୍ୟରୁ ଲୋକମାନେ କାହାରି କାହାରିକୁ ହତ୍ୟା କରିବେ, 17ପୁଣି, ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ। 18କିନ୍ତୁ ତୁମ୍ଭମାନଙ୍କ ମସ୍ତକର କେଶ ହିଁ ନଷ୍ଟ ହେବ ନାହିଁ; 19ସହିଷ୍ଣୁତା ଦ୍ୱାରା ତୁମ୍ଭେମାନେ ଆପଣା ଆପଣା ଜୀବନ ଲାଭ କରିବ।”
ଆଜିର ସନ୍ଥ
- ଆଲେକଜାଣ୍ଡ୍ରୀୟର ସନ୍ଥ କ୍ୟାଥେରିନ୍, କୁମାରୀ ଓ ଶହୀଦ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର A, ସପ୍ତାହ ଦିନର ବର୍ଷ II।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର