ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2026 › ନଭେମ୍ବର 26
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 26 ନଭେମ୍ବର 2026
ଗୁରୁବାର · ସାଧାରଣ କାଳର 34ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 34ତମ ସପ୍ତାହର ଗୁରୁବାର
ସାଧାରଣ ଦିନ · ଉପାସନାର ରଙ୍ଗ: ସବୁଜ
ଦିନର ପାଠ
ପ୍ରଥମ ପାଠ
ପ୍ରକା 18:1–2, 21–23; 19:1–3, 9
1ଏଥିଉତ୍ତାରେ ମୁଁ ଆଉ ଜଣେ ଦୂତଙ୍କୁ ସ୍ୱର୍ଗରୁ ଓହ୍ଲାଇ ଆସିବାର ଦେଖିଲି; ସେ ମହାକ୍ଷମତାପନ୍ନ, ତାହାଙ୍କ ମହିମାରେ ପୃଥିବୀ ଆଲୋକମୟ ହୋଇଗଲା। 2ସେ ମହା ଶଦ୍ଦ କରି ଉଚ୍ଚସ୍ୱରରେ କହିଲେ, “ମହାନଗରୀ ବାବିଲ ପତିତ, ଅଧଃପତିତ ହୋଇଅଛି, ତାହା ଭୂତମାନଙ୍କ ବାସସ୍ଥାନ ପୁଣି, ଅଶୁଚି ଆତ୍ମାମାନଙ୍କର ଏବଂ ଅଶୁଚି ଓ ଘୃଣ୍ୟ ପକ୍ଷୀମାନଙ୍କର ଆଶ୍ରୟ-ସ୍ଥାନ ହୋଇଅଛି। 21ତତ୍ପରେ ଜଣେ ବଳବାନ ଦୂତ ଗୋଟିଏ ବୃହତ୍ ଚକିପଥର ପରି ଗୋଟିଏ ପଥର ସମୁଦ୍ରରେ ନିକ୍ଷେପ କରି କହିଲେ, “ଏହିପରି ମହାବଳରେ, ମହାନଗରୀ ବାବିଲ ନିକ୍ଷିପ୍ତ ହେବ, ଆଉ କେବେ ହେଁ ତାହାର ଉଦ୍ଦେଶ୍ୟ ମିଳିବ ନାହିଁ। 22ବୀଣାବାଦକ, ଗାୟକ, ବଂଶୀବାଦକ ଓ ତୂରୀବାଦକମାନଙ୍କର ଶବ୍ଦ ତୋʼ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ, କୌଣସି ପ୍ରକାର ଶିଳ୍ପକର ତୋʼ ମଧ୍ୟରେ ଆଉ କେବେ ହେଁ ଦେଖାଯିବ ନାହିଁ, ଚକିପଥରର ଶଦ୍ଦ ତୋʼ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ, 23ପ୍ରଦୀପର ଆଲୋକ, ତୋʼ ମଧ୍ୟରେ ଆଉ କେବେ ହେଁ ପ୍ରଜ୍ୱଳିତ ହେବ ନାହିଁ, ପୁଣି, ବର କନ୍ୟାଙ୍କ ଶବ୍ଦ, ତୋʼ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ; କାରଣ ତୋହର ବଣିକମାନେ ପୃଥିବୀରେ ମହାନ ଥିଲେ, ଆଉ ତୋହର ମାୟାରେ ଜାତିସମୂହ ଭ୍ରାନ୍ତ ହୋଇଥିଲେ, 19:1ଏଥିଉତ୍ତାରେ ମୁଁ ସ୍ୱର୍ଗରେ ମହାଜନତାର ଶଦ୍ଦ ପରି ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, “ହାଲ୍ଲିଲୂୟା; ପରିତ୍ରାଣ, ଗୌରବ ଓ ପରାକ୍ରମ ଆମ୍ଭମାନଙ୍କ ଈଶ୍ବରଙ୍କର, 2କାରଣ ତାହାଙ୍କ ବିଚାର ସତ୍ୟ ଓ ନ୍ୟାୟ; ଯେଉଁ ମହା ବେଶ୍ୟା ଆପଣା ବ୍ୟଭିଚାର ଦ୍ୱାରା, ପୃଥିବୀକୁ ଭ୍ରଷ୍ଟ କରିଥିଲା, ସେ ତାହାକୁ ଦଣ୍ଡ ଦେଇ ଆପଣା ଦାସମାନଙ୍କ ରକ୍ତପାତର ପରିଶୋଧ ତାହାଠାରୁ ନେଇଅଛନ୍ତି।” 3ପୁଣି, ସେ ଦ୍ୱିତୀୟ ଥର କହିଲେ, “ହାଲ୍ଲିଲୂୟା; ତାହାର ଅଗ୍ନିର ଧୂମ ଯୁଗେ ଯୁଗେ ଉଠୁଥିବ।” 9ସେତେବେଳେ ସେ ମୋତେ କହିଲେ, “ଲେଖ, ଯେଉଁମାନେ ମେଷଶାବକଙ୍କ ବିବାହଭୋଜକୁ ନିମନ୍ତ୍ରିତ, ସେମାନେ ଧନ୍ୟ। ଆଉ ସେ ମୋତେ କହିଲେ, ଏହିସବୁ ଈଶ୍ବରଙ୍କ ସତ୍ୟ ବାକ୍ୟ।”
ପ୍ରତିଉତ୍ତର ଗୀତ
1ଧନ୍ୟବାଦାର୍ଥକ ଗୀତ। ହେ ସକଳ ଦେଶ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର। 2ଆନନ୍ଦରେ ସଦାପ୍ରଭୁଙ୍କର ସେବା କର; ଗାନ କରି ତାହାଙ୍କ ଛାମୁକୁ ଆସ। 3ସଦାପ୍ରଭୁ ଯେ ପରମେଶ୍ୱର ଅଟନ୍ତି, ଏହା ତୁମ୍ଭେମାନେ ଜ୍ଞାତ ହୁଅ; ସେ ଆମ୍ଭମାନଙ୍କୁ ନିର୍ମାଣ କରିଅଛନ୍ତି ଓ ଆମ୍ଭେମାନେ ତାହାଙ୍କର ଅଟୁ; ଆମ୍ଭେମାନେ ତାହାଙ୍କର ଲୋକ ଓ ତାହାଙ୍କ ଚରାସ୍ଥାନର ମେଷ। 4ଧନ୍ୟବାଦ କରୁ କରୁ ତାହାଙ୍କ ଦ୍ୱାରରେ ଓ ପ୍ରଶଂସା କରୁ କରୁ ତାହାଙ୍କ ପ୍ରାଙ୍ଗଣରେ ପ୍ରବେଶ କର; ତାହାଙ୍କର ସ୍ତବ କର ଓ ତାହାଙ୍କ ନାମର ଗୁଣାନୁବାଦ କର। 5କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; ଆଉ, ତାହାଙ୍କର ବିଶ୍ୱସ୍ତତା ପୁରୁଷାନୁକ୍ରମରେ ଥାଏ।
ସୁସମାଚାର
20“କିନ୍ତୁ ତୁମ୍ଭେମାନେ ଯେତେବେଳେ ଯିରୂଶାଲମ ସହରକୁ ସୈନ୍ୟସାମନ୍ତ ଘେରିଥିବା ଦେଖିବ, ସେତେବେଳେ ତାହା ଧ୍ୱଂସ ହେବା ଯେ ସନ୍ନିକଟ, ଏହା ଜାଣ। 21ସେତେବେଳେ ଯେଉଁମାନେ ଯିହୂଦିୟା ପ୍ରଦେଶରେ ଥାଆନ୍ତି, ସେମାନେ ପର୍ବତମାଳାକୁ ପଳାଇଯାଆନ୍ତୁ; ପୁଣି, ଯେଉଁମାନେ ନଗର ମଧ୍ୟରେ ଥାଆନ୍ତି, ସେମାନେ ପ୍ରସ୍ଥାନ କରନ୍ତୁ; ଆଉ, ଯେଉଁମାନେ ଗ୍ରାମଗୁଡ଼ିକରେ ଥାଆନ୍ତି, ସେମାନେ ନଗରରେ ପ୍ରବେଶ ନ କରନ୍ତୁ; 22କାରଣ ଲିଖିତ ବିଷୟସବୁ ସଫଳ ହେବା ନିମନ୍ତେ ତାହା ସମୁଚିତ ଦଣ୍ଡର ସମୟ ଅଟେ। 23ସେହି ସମୟରେ ଯେଉଁମାନେ ଗର୍ଭବତୀ ଓ ସ୍ତନ୍ୟଦାତ୍ରୀ, ହାୟ, ସେମାନେ କ୍ଲେଶର ପାତ୍ର! କାରଣ ଦେଶରେ ମହା ବିପଦ ଓ ଏହି ଜାତି ପ୍ରତି କ୍ରୋଧ ଘଟିବ, 24ଆଉ ସେମାନେ ଖଡ୍ଗରେ ହତ ହେବେ ଓ ବନ୍ଦୀ ହୋଇ ସମସ୍ତ ଅଣଯିହୁଦୀ ମଧ୍ୟକୁ ନିଆଯିବେ, ପୁଣି, ଅଣଯିହୁଦୀମାନଙ୍କର କାଳ ସମ୍ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ଯିରୂଶାଲମ ସେମାନଙ୍କର ପଦଦଳିତ ହୋଇ ରହିବ।” 25“ପୁଣି, ସୂର୍ଯ୍ୟ, ଚନ୍ଦ୍ର ଓ ନକ୍ଷତ୍ରମାଳାରେ ଲକ୍ଷଣ ଦେଖାଯିବ, ଆଉ ପୃଥିବୀରେ ଜାତିମାନଙ୍କ ମଧ୍ୟରେ କ୍ଲେଶ ଘଟିବ; ସମୁଦ୍ର ଓ ତରଙ୍ଗର ତର୍ଜନଗର୍ଜନ ହେତୁ ସେମାନେ ଅବାକ୍ ହେବେ, 26ପୁଣି, ଜଗତ ଉପରେ ଆସୁଥିବା ଘଟଣା ସବୁକୁ ଅପେକ୍ଷା କରି ଲୋକେ ମୂର୍ଚ୍ଛିତ ହେବେ, କାରଣ ଆକାଶମଣ୍ଡଳର ଶକ୍ତିସମୂହ ବିଚଳିତ ହେବ। 27ସେତେବେଳେ ଲୋକେ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମ ଓ ମହାମହିମା ସହ ମେଘରେ ଆଗମନ କରିବା ଦେଖିବେ। 28କିନ୍ତୁ ଏହି ସମସ୍ତ ଘଟଣା ଆରମ୍ଭ ହେଲେ ତୁମ୍ଭେମାନେ ଉପରକୁ ଅନାଅ ଓ ମସ୍ତକ ଉଠାଅ, ଯେଣୁ ତୁମ୍ଭମାନଙ୍କର ମୁକ୍ତି ସନ୍ନିକଟ।”
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର A, ସପ୍ତାହ ଦିନର ବର୍ଷ II।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର