Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2026 › ନଭେମ୍ବର 27

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 27 ନଭେମ୍ବର 2026

ଶୁକ୍ରବାର · ସାଧାରଣ କାଳର 34ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 34ତମ ସପ୍ତାହର ଶୁକ୍ରବାର

ସାଧାରଣ ଦିନ · ଉପାସନାର ରଙ୍ଗ: ସବୁଜ

ଉପବାସ ଓ ପ୍ରାୟଶ୍ଚିତ୍ତ

ପ୍ରାୟଶ୍ଚିତ୍ତର ଦିନ

ପ୍ରତ୍ୟେକ ଶୁକ୍ରବାର ପ୍ରାୟଶ୍ଚିତ୍ତର ଦିନ; ପ୍ରତ୍ୟେକ ବିଶପ୍ ସମ୍ମିଳନୀ ଏହା କିପରି ପାଳିବାକୁ ହେବ ସ୍ଥିର କରେ: ମାଂସରୁ ବିରତି କିମ୍ବା ପ୍ରାୟଶ୍ଚିତ୍ତର ଅନ୍ୟ କାର୍ଯ୍ୟ। ଉପବାସ 18ରୁ 59 ବର୍ଷ ପର୍ଯ୍ୟନ୍ତ, ବିରତି 14 ବର୍ଷରୁ ବାଧ୍ୟତାମୂଳକ।

ଦିନର ପାଠ

ପ୍ରଥମ ପାଠ

ପ୍ରକା 20:1–4, 11–21:2

1ପରେ ମୁଁ ଜଣେ ଦୂତଙ୍କୁ ସ୍ୱର୍ଗରୁ ଓହ୍ଲାଇ ଆସିବାର ଦେଖିଲି। ତାହାଙ୍କ ହସ୍ତରେ ପାତାଳକୁଣ୍ଡର ଚାବି ଓ ଗୋଟିଏ ବୃହତ୍ ଜଞ୍ଜିର ଥିଲା। 2ସେ ସେହି ସର୍ପ, ସେହି ପୁରାତନ ନାଗ, ଅର୍ଥାତ୍‍ ଦିଆବଳ ଓ ଶୟତାନକୁ ଧରି ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ବାନ୍ଧି ପକାଇଲେ, 3ପୁଣି, ତାହାକୁ ପାତାଳକୁଣ୍ଡରେ ନିକ୍ଷେପ କରି ସେଥିର ମୁଖ ବନ୍ଦ କଲେ ଓ ତାହା ଉପରେ ମୁଦ୍ରାଙ୍କ ଦେଲେ, ଯେପରି ସେହି ଏକ ସହସ୍ର ବର୍ଷ ଶେଷ ନ ହେବା ପର୍ଯ୍ୟନ୍ତ ସେ ଜାତିସମୂହକୁ ଆଉ ଭ୍ରାନ୍ତ କରିପାରିବ ନାହିଁ; ଏହାପରେ ଅଳ୍ପ କାଳ ନିମନ୍ତେ ତାହାକୁ ମୁକ୍ତ ହେବାକୁ ହେବ। 4ପରେ ମୁଁ ସିଂହାସନସମୂହ ଦେଖିଲି; ସେହିସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା। ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଈଶ୍ବରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକ ଛେଦନ ହୋଇଥିଲା, ପୁଣି, ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କଲେ। 11ତତ୍ପରେ ମୁଁ ଗୋଟିଏ ବୃହତ୍ ଶୁଭ୍ରବର୍ଣ୍ଣ ସିଂହାସନ ଓ ସେଠାରେ ବସିଥିବା ଜଣେ ବ୍ୟକ୍ତିଙ୍କୁ ଦର୍ଶନ କଲି; ତାହାଙ୍କ ସମ୍ମୁଖରୁ ପୃଥିବୀ ଓ ଆକାଶମଣ୍ଡଳ ପଳାୟନ କଲା, ସେମାନଙ୍କ ନିମନ୍ତେ ଆଉ ସ୍ଥାନ ମିଳିଲା ନାହିଁ। 12ପୁଣି, ମୁଁ କ୍ଷୁଦ୍ର ଓ ମହାନ ସମସ୍ତ ମୃତ ଲୋକଙ୍କୁ ସିଂହାସନର ସମ୍ମୁଖରେ ଠିଆ ହୋଇଥିବାର ଦେଖିଲି, ଆଉ ପୁସ୍ତକସବୁ ଫିଟାଗଲା; ପରେ ଜୀବନ ପୁସ୍ତକ ନାମକ ଆଉ ଗୋଟିଏ ପୁସ୍ତକ ଫିଟାଗଲା; ସେହି ପୁସ୍ତକମାନଙ୍କରେ ଲିଖିତ ବିଷୟ ପ୍ରମାଣେ ମୃତମାନେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ। 13ସମୁଦ୍ର ଆପଣାର ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲା, ଆଉ ମୃତ୍ୟୁ ଓ ପାତାଳ ସେମାନଙ୍କ ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲେ; ପୁଣି, ସେମାନେ ପ୍ରତ୍ୟେକେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ। 14ତତ୍ପରେ ମୃତ୍ୟୁ ଓ ପାତାଳକୁ ଅଗ୍ନିମୟ ହ୍ରଦରେ ପକାଗଲା। ଏହି ମୃତ୍ୟୁ, ଅର୍ଥାତ୍‍ ଅଗ୍ନିମୟ ହ୍ରଦ, ଦ୍ୱିତୀୟ ମୃତ୍ୟୁ। 15ଯାହାର ନାମ ଜୀବନ ପୁସ୍ତକରେ ଲେଖା ହୋଇଥିବାର ଦେଖା ନ ଗଲା, ତାହାକୁ ଅଗ୍ନିମୟ ହ୍ରଦରେ ପକାଗଲା। 21:1ପରେ “ଏକ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ” ଦେଖିଲି, କାରଣ ପ୍ରଥମ ଆକାଶମଣ୍ଡଳ ଓ ପ୍ରଥମ ପୃଥିବୀ ଲୋପ ପାଇଥିଲା, ପୁଣି, ସମୁଦ୍ର ଆଉ ନ ଥିଲା। 2ପୁଣି, ମୁଁ ପବିତ୍ର ନଗରୀ, ଅର୍ଥାତ୍‍ ନୂତନ ଯିରୂଶାଲମ ସହରକୁ ବର ନିମନ୍ତେ ସଜ୍ଜିତା କନ୍ୟାର ସଦୃଶ ପ୍ରସ୍ତୁତ ହୋଇ ସ୍ୱର୍ଗରୁ ଈଶ୍ବରଙ୍କ ନିକଟରୁ ଅବତରଣ କରିବାର ଦେଖିଲି।

ପ୍ରତିଉତ୍ତର ଗୀତ

ଗୀତ 84:2–5, 7

2ସଦାପ୍ରଭୁଙ୍କ ପ୍ରାଙ୍ଗଣ ନିମନ୍ତେ ମୋହର ପ୍ରାଣ ଲାଳସା କରେ, ମଧ୍ୟ ମୂର୍ଚ୍ଛିତ ହୁଏ; ମୋହର ହୃଦୟ ଓ ଶରୀର ଜୀବିତ ପରମେଶ୍ୱରଙ୍କ ନିମନ୍ତେ ଡକା ଛାଡ଼ଇ। 3ହଁ, ଘରଚଟିଆ ଆପଣା ପାଇଁ ଏକ ଗୃହ ଓ ଖଞ୍ଜନପକ୍ଷୀ ଛୁଆ ରଖିବା ନିମନ୍ତେ ଆପଣା ପାଇଁ ଏକ ବସା ପାଇଅଛି, ହେ ସୈନ୍ୟାଧିପତି ସଦାପ୍ରଭୋ, ମୋହର ରାଜନ୍‍ ଓ ମୋହର ପରମେଶ୍ୱର, ତୁମ୍ଭର ଯଜ୍ଞବେଦି ସେହି ସ୍ଥାନ, 4ଯେଉଁମାନେ ତୁମ୍ଭ ଗୃହରେ ବାସ କରନ୍ତି, ସେମାନେ ଧନ୍ୟ; ସେମାନେ ନିରନ୍ତର ତୁମ୍ଭର ପ୍ରଶଂସା କରୁଥିବେ। [ସେଲା] 5ଯାହାର ବଳ ତୁମ୍ଭଠାରେ ଥାଏ, ଯାହାର ହୃଦୟରେ ସିୟୋନଗାମୀ ରାଜପଥ ଥାଏ, ସେ ଲୋକ ଧନ୍ୟ। 7ସେମାନେ ଉତ୍ତରୋତ୍ତର ବଳବାନ ହୋଇ ଅଗ୍ରସର ହୁଅନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ସିୟୋନରେ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହୁଅନ୍ତି।

ସୁସମାଚାର

ଲୂକ 21:29–33

29ଆଉ ସେ ସେମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ କହିଲେ, “ଡିମ୍ବିରି ପୁଣି, ସମସ୍ତ ବୃକ୍ଷ ପ୍ରତି ଦୃଷ୍ଟିପାତ କର; 30ଯେତେବେଳେ ସେଗୁଡ଼ିକ ପଲ୍ଲବିତ ହୁଏ, ସେତେବେଳେ ତୁମ୍ଭେମାନେ ତାହା ଦେଖି ଗ୍ରୀଷ୍ମକାଳ ସନ୍ନିକଟ ହେଲାଣି ବୋଲି ନିଜେ ନିଜେ ଜାଣିଥାଅ; 31ସେହିପରି ତୁମ୍ଭେମାନେ ମଧ୍ୟ ଏହି ସମସ୍ତ ଘଟଣା ଦେଖିଲେ ଈଶ୍ବରଙ୍କ ରାଜ୍ୟ ଯେ ସନ୍ନିକଟ, ଏହା ଜାଣ। 32ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପୁରୁଷ କୌଣସି ପ୍ରକାରେ ଲୋପ ପାଇବ ନାହିଁ। 33ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।”

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର A, ସପ୍ତାହ ଦିନର ବର୍ଷ II।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର