Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2026 › ନଭେମ୍ବର 27

ଅର୍ଥୋଡକ୍ସ ପଞ୍ଜିକା · 14 ନଭେମ୍ବର (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 27 ନଭେମ୍ବର 2026

ଶୁକ୍ରବାର · ପେଣ୍ଟିକଷ୍ଟ ପରେ 26ତମ ସପ୍ତାହ · ସ୍ୱର 8

ପର୍ବ ଓ ସନ୍ଥ

Holy and All-praised Apostle Philip (1st C)

ଉପବାସ ଦିନ

ଉପବାସ: ତେଲ ସହିତ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ସନ୍ଧ୍ୟା ପ୍ରାର୍ଥନା: ପାଠ

ପ୍ର. ପିତ 1:1–2:6

1ପିତର, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ପ୍ରେରିତ, ପନ୍ତ, ଗାଲାତୀୟ, କାପ୍ପାଦକିଆ, ଏସିଆ ଓ ବୀଥୂନିଆ ଅଞ୍ଚଳଗୁଡ଼ିକରେ ଛିନ୍ନଭିନ୍ନ ଯେଉଁ ପ୍ରବାସୀମାନେ, 2ପିତା ଈଶ୍ବରଙ୍କ ପୂର୍ବ ଜ୍ଞାନାନୁସାରେ ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ଆଜ୍ଞାବହ, ପୁଣି, ଯୀଶୁ ଖ୍ରୀଷ୍ଟଙ୍କର ରକ୍ତରେ ସିଞ୍ଚିତ ହେବା ନିମନ୍ତେ ମନୋନୀତ ହୋଇଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି। ତୁମ୍ଭମାନଙ୍କ ପ୍ରତି ପ୍ରଚୁର ରୂପେ ଅନୁଗ୍ରହ ଓ ଶାନ୍ତି ହେଉ। 3ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ; ସେ ମୃତମାନଙ୍କ ମଧ୍ୟରୁ ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଜୀବନଦାୟକ ଭରସା ପ୍ରାପ୍ତି ନିମନ୍ତେ, 4ଅର୍ଥାତ୍‍ ଯେଉଁ ଅକ୍ଷୟ, ଅକଳଙ୍କିତ, ଅଜର ଅଧିକାର ତୁମ୍ଭମାନଙ୍କ ନିମନ୍ତେ ସ୍ୱର୍ଗରେ ସଞ୍ଚିତ ହୋଇଅଛି, ତାହା ପାଇବା ନିମନ୍ତେ ଆପଣାର ମହାଦୟାରେ ଆମ୍ଭମାନଙ୍କୁ ନୂତନ ଜନ୍ମ ଦେଇଅଛନ୍ତି। 5ଯେଉଁ ପରିତ୍ରାଣ ଶେଷକାଳରେ ପ୍ରକାଶିତ ହେବା ପାଇଁ ପ୍ରସ୍ତୁତ ହୋଇଅଛି, ସେଥିନିମନ୍ତେ ତୁମ୍ଭେମାନେ ଈଶ୍ବରଙ୍କ ଶକ୍ତିରେ ବିଶ୍ୱାସ ଦ୍ୱାରା ସୁରକ୍ଷିତ ହେଉଅଛ। 6ଏଥିରେ ତୁମ୍ଭେମାନେ ଆନନ୍ଦ କରୁଅଛ, ତଥାପି ବର୍ତ୍ତମାନ ଅଳ୍ପ ସମୟ ପାଇଁ ନାନା ପରୀକ୍ଷା ଦ୍ୱାରା ଦୁଃଖଭୋଗ କରିବା ତୁମ୍ଭମାନଙ୍କ ପକ୍ଷରେ ଆବଶ୍ୟକ ହୁଏ, 7ଯେପରି ଅଗ୍ନି ଦ୍ୱାରା ପରୀକ୍ଷିତ କ୍ଷୟଣୀୟ ସୁବର୍ଣ୍ଣ ଅପେକ୍ଷା ଅଧିକ ବହୁମୂଲ୍ୟ ଯେ ତୁମ୍ଭମାନଙ୍କର ପରୀକ୍ଷାସିଦ୍ଧ ବିଶ୍ୱାସ, ତାହା ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ପ୍ରଶଂସା, ଗୌରବ ଓ ସମ୍ଭ୍ରମର କାରଣ ହେବ। 8ତୁମ୍ଭେମାନେ ତାହାଙ୍କୁ ନ ଦେଖି ପ୍ରେମ କରୁଅଛ, ପୁଣି, ଏବେ ସୁଦ୍ଧା ନ ଦେଖିଲେ ହେଁ ତାହାଙ୍କଠାରେ ବିଶ୍ୱାସ କରି ଅକଥନୀୟ ଓ ଗୌରବଯୁକ୍ତ ଆନନ୍ଦରେ 9ଆନନ୍ଦିତ ହୋଇ ତୁମ୍ଭମାନଙ୍କ ବିଶ୍ୱାସର ଫଳ ଯେ ଆତ୍ମାର ପରିତ୍ରାଣ, ତାହା ପାଉଅଛ। ଭାବବାଦୀମାନେ ତୁମ୍ଭମାନଙ୍କ ନିମନ୍ତେ ନିରୂପିତ ଅନୁଗ୍ରହ ବିଷୟରେ ଭାବବାଣୀ ପ୍ରକାଶ କଲେ, 10ପୁଣି, ସେହି ପରିତ୍ରାଣ ସମ୍ବନ୍ଧରେ ଯତ୍ନ ସହକାରେ ଅନ୍ୱେଷଣ ଓ ଅନୁସନ୍ଧାନ କଲେ। 11ଖ୍ରୀଷ୍ଟଙ୍କ ଦୁଃଖଭୋଗ ଓ ତତ୍ପରବର୍ତ୍ତୀ ଗୌରବ ବିଷୟରେ ପୂର୍ବରୁ ପ୍ରମାଣଦାତା ଯେ ସେମାନଙ୍କର ମଧ୍ୟବର୍ତ୍ତୀ ଖ୍ରୀଷ୍ଟଙ୍କର ଆତ୍ମା, ସେ କେଉଁ କାଳକୁ ଲକ୍ଷ୍ୟ କରୁଅଛନ୍ତି, ତାହା ସେମାନେ ଅନୁସନ୍ଧାନ କଲେ। 12ଏହି ସମସ୍ତ ବିଷୟରେ ସେମାନେ ଯେ ଆପଣା ଆପଣାର ସେବା ନ କରି ତୁମ୍ଭମାନଙ୍କର ସେବା କରୁଥିଲେ, ଏହା ସେମାନଙ୍କ ନିକଟରେ ପ୍ରକାଶିତ ହୋଇଥିଲା, ଆଉ, ସେହି ସମସ୍ତ ବିଷୟ ସ୍ୱର୍ଗରୁ ପ୍ରେରିତ ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାରକମାନଙ୍କ ଦ୍ୱାରା ଏବେ ତୁମ୍ଭମାନଙ୍କୁ ଜଣାଇ ଦିଆଯାଇଅଛି; ସେହିସବୁ ବିଷୟ ଦୂତମାନେ ମଧ୍ୟ ନିରୀକ୍ଷଣ କରିବାକୁ ଇଚ୍ଛା କରନ୍ତି। 13ଅତଏବ, ଆପଣା ଆପଣା ମନରୂପ କଟି ବନ୍ଧନ କରି ସଚେତନ ଥାଅ, ପୁଣି, ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ଯେଉଁ ଅନୁଗ୍ରହ ତୁମ୍ଭମାନଙ୍କ ପ୍ରତି ବର୍ତ୍ତିବ, ସେଥିରେ ସମ୍ପୂର୍ଣ୍ଣ ରୂପେ ଭରସା ରଖ। 14ତୁମ୍ଭମାନଙ୍କ ପୂର୍ବ ଅଜ୍ଞାନତା ସମୟର କୁଅଭିଳାଷର ଅନୁରୂପୀ ହୁଅ ନାହିଁ, 15ମାତ୍ର ତୁମ୍ଭମାନଙ୍କର ଆହ୍ୱାନକର୍ତ୍ତା ଯେପରି ପବିତ୍ର, ତୁମ୍ଭେମାନେ ମଧ୍ୟ ଆଜ୍ଞାବହ ସନ୍ତାନମାନଙ୍କ ପରି ସମସ୍ତ ଆଚରଣରେ ସେହିପରି ପବିତ୍ର ହୁଅ। 16ଯେଣୁ ପବିତ୍ର ଶାସ୍ତ୍ରରେ ଲେଖାଅଛି, ତୁମ୍ଭେମାନେ ପବିତ୍ର ହୁଅ, କାରଣ ଆମ୍ଭେ ପବିତ୍ର। 17ଆଉ ଯେ ମୁଖାପେକ୍ଷା ନ କରି ପ୍ରତ୍ୟେକ ଲୋକର କର୍ମାନୁସାରେ ବିଚାର କରନ୍ତି, ତାହାଙ୍କୁ ଯଦି ପିତା ବୋଲି ସମ୍ବୋଧନ କରୁଅଛ, ତେବେ ଆପଣା ଆପଣାର ପ୍ରବାସକାଳ ଭୟ ସହକାରେ କ୍ଷେପଣ କର; 18ଯେଣୁ ତୁମ୍ଭେମାନେ ଜାଣ ଯେ, ତୁମ୍ଭମାନଙ୍କ ପିତୃ-ପୁରୁଷମାନଙ୍କଠାରୁ ପ୍ରାପ୍ତ ପରମ୍ପରାଗତ ନିରର୍ଥକ ଆଚାର-ବ୍ୟବହାରରୁ ରୂପା କି ସୁନା ପରି କ୍ଷୟଣୀୟ ବସ୍ତୁ ଦ୍ୱାରା ମୁକ୍ତ ନ ହୋଇ 19ବରଂ ନିଖୁନ୍ତ ଓ ନିଷ୍କଳଙ୍କ ମେଷଶାବକ ସଦୃଶ ଖ୍ରୀଷ୍ଟଙ୍କ ବହୁମୂଲ୍ୟ ରକ୍ତରେ ମୁକ୍ତ ହୋଇଅଛ। 20ସେ ଜଗତର ପତ୍ତନ ପୂର୍ବରୁ ନିରୂପିତ ହୋଇ ତୁମ୍ଭମାନଙ୍କ ନିମନ୍ତେ ଏହି ଶେଷକାଳରେ ପ୍ରକାଶିତ ହୋଇଅଛନ୍ତି; 21ଯେଉଁ ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ଗୌରବାନ୍ୱିତ କରିଅଛନ୍ତି, ସେହି ଈଶ୍ବରଙ୍କଠାରେ ତୁମ୍ଭେମାନେ ତାହାଙ୍କ ଦ୍ୱାରା ବିଶ୍ୱାସ କରୁଅଛ, ଏଣୁ ଈଶ୍ବର ତୁମ୍ଭମାନଙ୍କର ବିଶ୍ୱାସ ଓ ଭରସାର ସ୍ଥାନ ଅଟନ୍ତି। 22ତୁମ୍ଭେମାନେ ସତ୍ୟର ଆଜ୍ଞାବହ ହୋଇ ନିଷ୍କପଟ ଭ୍ରାତୃପ୍ରେମ ନିମନ୍ତେ ଆପଣା ଆପଣା ଆତ୍ମାକୁ ଶୁଚି କରିଥିବାରୁ ଅନ୍ତର ସହ ଏକାଗ୍ରଭାବେ ପରସ୍ପରକୁ ପ୍ରେମ କର; 23ଯେଣୁ ତୁମ୍ଭେମାନେ କ୍ଷୟଣୀୟ ବୀଜରୁ ନୁହେଁ, ବରଂ ଅକ୍ଷୟ ବୀଜରୁ, ଅର୍ଥାତ୍‍ ଈଶ୍ବରଙ୍କ ଜୀବନ୍ତ ଓ ନିତ୍ୟସ୍ଥାୟୀ ବାକ୍ୟ ଦ୍ୱାରା ନୂତନୀକୃତ ହୋଇଅଛ। 24କାରଣ ପବିତ୍ର ଶାସ୍ତ୍ରରେ ଯେପରି ଲେଖାଅଛି, “ସମସ୍ତ ମର୍ତ୍ତ୍ୟ ତୃଣ ତୁଲ୍ୟ, ତାହାର ସମସ୍ତ ଶୋଭା ତୃଣର ପୁଷ୍ପ ସଦୃଶ; ତୃଣ ଶୁଖିଯାଏ, ଆଉ ଫୁଲ ଝଡ଼ିପଡ଼େ, 25କିନ୍ତୁ ଈଶ୍ବରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ।” ଏହା ସେହି ସୁସମାଚାରର ବାକ୍ୟ, ଯାହା ତୁମ୍ଭମାନଙ୍କ ନିକଟରେ ପ୍ରଚାରିତ ହୋଇଅଛି। 2:1ଅତଏବ ପ୍ରଭୁ ଯେ ମଙ୍ଗଳମୟ, ଏହା ଯଦି ଆସ୍ୱାଦନ କରିଅଛ, 2ତାହାହେଲେ ସମସ୍ତ ପ୍ରକାର ଦୁଷ୍ଟତା, ଛଳ, କପଟ, ଈର୍ଷା ଓ ପରନିନ୍ଦା ପରିତ୍ୟାଗ କରି 3ନବଜାତ ଶିଶୁତୁଲ୍ୟ ପାରମାର୍ଥିକ ଅମିଶ୍ରିତ ଦୁଗ୍ଧ ପାନ କରିବାକୁ ଇଚ୍ଛା କର, ଯେପରି ତଦ୍ୱାରା ପରିତ୍ରାଣାର୍ଥେ ବୃଦ୍ଧି ପାଇପାର। 4ଜୀବନ୍ତ ପ୍ରସ୍ତର ସ୍ୱରୂପ ଯେ ସେହି ପ୍ରଭୁ, ସେ ମନୁଷ୍ୟମାନଙ୍କ ଦ୍ୱାରା ଅଗ୍ରାହ୍ୟ ହେଲେ ସତ, କିନ୍ତୁ ଈଶ୍ବରଙ୍କ ନିକଟରେ ମନୋନୀତ ଓ ବହୁମୂଲ୍ୟ ଅଟନ୍ତି, 5ତାହାଙ୍କ ନିକଟକୁ ଆସି ତୁମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବରଙ୍କ ନିକଟରେ ସୁଗ୍ରାହ୍ୟ ଆତ୍ମିକ ବଳି ଉତ୍ସର୍ଗ କରିବା ନିମନ୍ତେ ପବିତ୍ର ଯାଜକବର୍ଗ ହେବା ପାଇଁ ଜୀବନ୍ତ ପ୍ରସ୍ତର ସ୍ୱରୂପ ହୋଇ ଗୋଟିଏ ଆତ୍ମିକ ଗୃହରୂପରେ ନିର୍ମିତ ହୁଅ। 6କାରଣ ଶାସ୍ତ୍ରରେ ଲିଖିତ ଅଛି, “ଦେଖ, ଆମ୍ଭେ ସିୟୋନରେ ଗୋଟିଏ ମନୋନୀତ, ଓ ବହୁମୂଲ୍ୟ କୋଣର ପ୍ରଧାନ ପ୍ରସ୍ତର ସ୍ଥାପନ କରୁଅଛୁ, ଆଉ ଯେ ତାହାଙ୍କଠାରେ ବିଶ୍ୱାସ କରିବ, ସେ ଲଜ୍ଜିତ ହେବ ନାହିଁ।”

ସନ୍ଧ୍ୟା ପ୍ରାର୍ଥନା: ପାଠ

ପ୍ର. ପିତ 2:21–3:9

21ଏଥିନିମନ୍ତେ ହିଁ ତୁମ୍ଭେମାନେ ଆହୂତ ହୋଇଅଛ, କାରଣ ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ପଦଚିହ୍ନ ଦେଇ ଗମନ କର, ସେଥିପାଇଁ ସେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ଦୁଃଖଭୋଗ କରି ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଦେଇ ଯାଇଅଛନ୍ତି; 22“ସେ କୌଣସି ପାପ କଲେ ନାହିଁ, କିଅବା ତାହାଙ୍କ ମୁଖରେ କୌଣସି ଛଳକଥା ନ ଥିଲା।” 23ସେ ନିନ୍ଦା ପାଇବା ବଦଳରେ ଫେରି ନିନ୍ଦା କଲେ ନାହିଁ; ଦୁଃଖଭୋଗ ସହ୍ୟ କରିବା ବଦଳରେ ପ୍ରତିହିଂସା କରିବାକୁ ଭୟ ଦେଖାଇଲେ ନାହିଁ, କିନ୍ତୁ ନ୍ୟାୟବିଚାରକର୍ତ୍ତା ଈଶ୍ବରଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କଲେ; 24ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନଯାପନ କରୁ, ଏଥିନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ। 25କାରଣ ତୁମ୍ଭେମାନେ ମେଷ ତୁଲ୍ୟ ବିପଥଗାମୀ ହୋଇଥିଲ, କିନ୍ତୁ ଏବେ ତୁମ୍ଭମାନଙ୍କ ଆତ୍ମାର ପାଳକ ଓ ଅଧ୍ୟକ୍ଷଙ୍କ ନିକଟକୁ ବାହୁଡ଼ି ଆସିଅଛ। 3:1ସେହିପରି, ହେ ଭାର୍ଯ୍ୟାମାନେ, ତୁମ୍ଭେମାନେ ଆପଣା ଆପଣା ସ୍ୱାମୀଙ୍କର ବଶୀଭୂତା ହୁଅ, 2ଯେପରି ସେମାନଙ୍କ ମଧ୍ୟରୁ କେହି କେହି ବାକ୍ୟର ଅନାଜ୍ଞାବହ ହେଲେ ସୁଦ୍ଧା ତୁମ୍ଭମାନଙ୍କର ସଭୟ ସଦାଚରଣ ଦେଖି ବାକ୍ୟ ବିନୁ ଆପଣା ଆପଣା ଭାର୍ଯ୍ୟାର ଆଚରଣ ଦ୍ୱାରା ପରିବର୍ତ୍ତିତ ହେବେ। 3ପୁଣି, କେଶବେଶ, ସୁବର୍ଣ୍ଣ ଆଭରଣ ଓ ସୁନ୍ଦର ବସ୍ତ୍ର ପରିଧାନ, ଏପରି ଯେଉଁ ବାହ୍ୟ ଭୂଷଣ, ତାହା ତୁମ୍ଭମାନଙ୍କର ଭୂଷଣ ନ ହୋଇ, 4ହୃଦୟର ଯେଉଁ କୋମଳ ଓ ଶାନ୍ତିଯୁକ୍ତ ଗୁପ୍ତ ସ୍ୱଭାବ ଈଶ୍ବରଙ୍କ ଦୃଷ୍ଟିରେ ବହୁମୂଲ୍ୟ, ତାହା ହିଁ ତୁମ୍ଭମାନଙ୍କର ଅକ୍ଷୟ ଭୂଷଣ ହେଉ। 5କାରଣ ପୂର୍ବକାଳରେ ସାଧ୍ୱୀ ସ୍ତ୍ରୀମାନେ ମଧ୍ୟ ଈଶ୍ବରଙ୍କଠାରେ ଭରସା ରଖି ଆପଣା ଆପଣା ସ୍ୱାମୀଙ୍କର ବଶୀଭୂତା ହୋଇ ଏହି ପ୍ରକାରେ ଆପଣା ଆପଣାକୁ ଭୂଷିତା କରୁଥିଲେ। 6ସେହିପରି ସାରା ଅବ୍ରହାମଙ୍କୁ ପ୍ରଭୁ ବୋଲି କହି ତାହାଙ୍କର ଆଜ୍ଞାବହ ହେଲେ; ତୁମ୍ଭେମାନେ ଯଦି କୌଣସି ବିଷୟରେ ଭୀତ ନ ହୋଇ ସଦାଚରଣ କର, ତେବେ ତୁମ୍ଭେମାନେ ହିଁ ତାହାଙ୍କର ସନ୍ତାନ। 7ସେହି ପ୍ରକାରେ, ହେ ସ୍ୱାମୀମାନେ, ତୁମ୍ଭମାନଙ୍କ ପ୍ରାର୍ଥନାରେ ଯେପରି ବାଧା ନ ଜନ୍ମେ, ଏଥିନିମନ୍ତେ ସ୍ତ୍ରୀମାନଙ୍କୁ ଅପେକ୍ଷାକୃତ ଦୁର୍ବଳା-ପାତ୍ରୀ ଓ ଆପଣାମାନଙ୍କ ସହିତ ଜୀବନରୂପ ଅନୁଗ୍ରହଦାନର ସହାଧିକାରିଣୀ ଜାଣି ସେମାନଙ୍କୁ ସମାଦର କର, ପୁଣି, ଜ୍ଞାନରେ ସେମାନଙ୍କର ସହିତ ବାସ କର। 8ଶେଷ କଥା ଏହି, ତୁମ୍ଭେମାନେ ସମସ୍ତେ ଏକମନା, ପରସ୍ପରର ସୁଖଦୁଃଖର ସହଭାଗୀ, ଭ୍ରାତୃପ୍ରେମରେ ପ୍ରେମୀ, କୋମଳ ହୃଦୟ ଓ ନମ୍ରଚିତ୍ତ ହୁଅ; 9ଅନିଷ୍ଟ ପରିବର୍ତ୍ତେ ଅନିଷ୍ଟ କିଅବା ନିନ୍ଦାର ପରିବର୍ତ୍ତେ ନିନ୍ଦା ନ କରି ଅନ୍ୟ ପକ୍ଷରେ ବରଂ ଆଶୀର୍ବାଦ କର, କାରଣ ତୁମ୍ଭେମାନେ ଯେପରି ଆଶୀର୍ବାଦର ଅଧିକାରୀ ହୁଅ, ଏଥିପାଇଁ ଆହୂତ ହୋଇଅଛ।

ସନ୍ଧ୍ୟା ପ୍ରାର୍ଥନା: ପାଠ

ପ୍ର. ପିତ 4:1–11

1ଖ୍ରୀଷ୍ଟ ଶରୀରରେ ଦୁଃଖଭୋଗ କରିଥିବାରୁ ତୁମ୍ଭେମାନେ ମଧ୍ୟ ସେହିପରି ମନ ଧରି ଆପଣାମାନଙ୍କୁ ସୁସଜ୍ଜିତ କର, କାରଣ ଯେ, ଶରୀରରେ ଦୁଃଖଭୋଗ କରିଅଛି, ସେ ପାପରୁ ନିବୃତ୍ତ ହୋଇଅଛି, 2ଯେପରି ତୁମ୍ଭେମାନେ ଜାଗତିକ ଜୀବନର ଅବଶିଷ୍ଟ କାଳ ମନୁଷ୍ୟର କୁଅଭିଳାଷ ଅନୁସାରେ କ୍ଷେପଣ ନ କରି ଈଶ୍ବରଙ୍କ ଇଚ୍ଛାନୁସାରେ କ୍ଷେପଣ କର। 3ଯେଣୁ ଅଣଯିହୁଦୀମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ତୁମ୍ଭେମାନେ ଯେତେକାଳ କାମୁକତା, କୁଅଭିଳାଷ, ମଦ୍ୟପାନ, ରଙ୍ଗରସ, ମତ୍ତତା ଓ ଘୃଣ୍ୟ ପ୍ରତିମାପୂଜା କରୁଥିଲ, ତାହା ଯଥେଷ୍ଟ; 4ଏପ୍ରକାର ଉଚ୍ଛୃଙ୍ଖଳ ପନ୍ଥାରେ ତୁମ୍ଭେମାନେ ଯେ ସେମାନଙ୍କ ସହିତ ଧାବମାନ ହେଉ ନାହଁ, ଏହା ସେମାନେ ଆଶ୍ଚର୍ଯ୍ୟ ମଣି ତୁମ୍ଭମାନଙ୍କର ନିନ୍ଦା କରନ୍ତି; 5କିନ୍ତୁ ଯେ ଜୀବିତ ଓ ମୃତ ଲୋକମାନଙ୍କର ବିଚାର କରିବାକୁ ଉଦ୍ୟତ, ସେହି ଈଶ୍ବରଙ୍କ ଛାମୁରେ ସେମାନଙ୍କୁ ହିସାବ ଦେବାକୁ ହେବ। 6କାରଣ ଏହି ଉଦ୍ଦେଶ୍ୟରେ ମୃତମାନଙ୍କ ନିକଟରେ ମଧ୍ୟ ସୁସମାଚାର ପ୍ରଚାରିତ ହେଲା, ଯେପରି ସେମାନେ ମନୁଷ୍ୟମାନଙ୍କ ସଦୃଶ ଶରୀରରେ ବିଚାରିତ ହେଲେ ହଁ ଈଶ୍ବରଙ୍କ ସଦୃଶ ଆତ୍ମାରେ ସଜୀବ ହେବେ। 7ମାତ୍ର ସମସ୍ତ ବିଷୟର ଅନ୍ତିମ ସମୟ ସନ୍ନିକଟ। ଅତଏବ ସୁବୁଦ୍ଧି ହୁଅ, ପୁଣି, ପ୍ରାର୍ଥନା କରିବା ପାଇଁ ଜାଗ୍ରତ ଥାଅ, 8ବିଶେଷରେ ପ୍ରଗାଢ଼ ପ୍ରେମରେ ପରସ୍ପରକୁ ପ୍ରେମ କରୁଥାଅ, କାରଣ ପ୍ରେମ ବହୁଳ ପାପ ଆଚ୍ଛାଦନ କରେ। 9କୁଣ୍ଠିତ ନ ହୋଇ ପରସ୍ପରର ଆତିଥ୍ୟ କର; 10ପ୍ରତ୍ୟେକ ଜଣ ଯେଉଁପରି ଅନୁଗ୍ରହ ଦାନ ପାଇଅଛ, ସେହି ପ୍ରକାରେ ଈଶ୍ବରଙ୍କ ବହୁବିଧ ଅନୁଗ୍ରହର ଉତ୍ତମ ଭଣ୍ଡାରଘରିଆ ସ୍ୱରୂପେ ତଦ୍ୱାରା ପରସ୍ପରର ସେବା କର; 11କେହି ଯଦି ପ୍ରଚାର କରେ, ତେବେ ସେ ଈଶ୍ବରଙ୍କ ବାକ୍ୟର ପ୍ରଚାରକ ପରି ପ୍ରଚାର କରୁ; କେହି ଯଦି ସେବା କରେ, ତେବେ ସେ ଈଶ୍ବରଙ୍କଠାରୁ ଶକ୍ତିପ୍ରାପ୍ତ ଲୋକ ପରି ସେବା କରୁ, ଯେପରି ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବର ଗୌରବାନ୍ୱିତ ହେବେ; ଯୁଗେ ଯୁଗେ ଗୌରବ ଓ ପରାକ୍ରମ ତାହାଙ୍କର। ଆମେନ୍‍।

ପ୍ରଭାତୀ ପ୍ରାର୍ଥନା: ସୁସମାଚାର

ଯୋହ 21:15–25

15ସେମାନେ ଭୋଜନ କଲା ଉତ୍ତାରେ ଯୀଶୁ ଶିମୋନ ପିତରଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ଏମାନଙ୍କଠାରୁ ଅଧିକ ପ୍ରେମ କରୁଅଛ?” ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ସେ ତାହାଙ୍କୁ କହିଲେ, “ମୋହର ମେଷଶାବକମାନଙ୍କୁ ଚରାଅ।” 16ସେ ପୁନର୍ବାର ଦ୍ୱିତୀୟ ଥର ତାହାଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ପ୍ରେମ କରୁଅଛ?” ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ସେ ତାହାଙ୍କୁ କହିଲେ, “ମୋହର ମେଷମାନଙ୍କୁ ପ୍ରତିପାଳନ କର।” 17ସେ ତୃତୀୟ ଥର ତାହାଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ? ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ,” ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ଯୀଶୁ ତାହାଙ୍କୁ କହିଲେ, “ମୋହର ମେଷମାନଙ୍କୁ ଚରାଅ। 18ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଯୁବକ ଥିବା ସମୟରେ ତୁମ୍ଭେ ଆପଣା କଟି ବନ୍ଧନ କରି ଯେଉଁ ଆଡ଼େ ଇଚ୍ଛା, ସେହି ଆଡ଼େ ଭ୍ରମଣ କରୁଥିଲ, କିନ୍ତୁ ବୃଦ୍ଧ ହେଲେ ତୁମ୍ଭେ ଆପଣା ହସ୍ତ ବିସ୍ତାର କରିବ ଓ ଅନ୍ୟ ଜଣେ ତୁମ୍ଭର କଟି ବନ୍ଧନ କରି, ଯେଉଁ ଆଡ଼େ ତୁମ୍ଭର ଇଚ୍ଛା ନ ଥିବ, ସେଆଡ଼େ ତୁମ୍ଭକୁ ଘେନିଯିବ।” 19ସେ କେଉଁ ପ୍ରକାର ମୃତ୍ୟୁଭୋଗ ଦ୍ୱାରା ଈଶ୍ବରଙ୍କୁ ଗୌରବାନ୍ୱିତ କରିବେ, ସେଥିର ସୂଚନା ଦେଇ ସେ ଏହା କହିଲେ। ଏହା କହିଲା ଉତ୍ତାରେ ସେ ତାହାଙ୍କୁ କହିଲେ, “ମୋହର ଅନୁଗାମୀ ହୁଅ।” 20ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ ଓ ଯେ ମଧ୍ୟ ରାତ୍ରିଭୋଜ ସମୟରେ ତାହାଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି, ପ୍ରଭୁ, ଆପଣଙ୍କୁ କିଏ ଶତ୍ରୁ ହସ୍ତରେ ସମର୍ପଣ କରିବ ବୋଲି ପଚାରିଥିଲେ, ସେହି ଶିଷ୍ୟଙ୍କୁ ପିତର ବୁଲିପଡ଼ି ପଛରେ ଆସୁଥିବା ଦେଖିଲେ। 21ପିତର ତାହାଙ୍କୁ ଦେଖି ଯୀଶୁଙ୍କୁ ପଚାରିଲେ, ପ୍ରଭୁ, ଏହାର ବିଷୟରେ କଅଣ? 22ଯୀଶୁ ତାହାଙ୍କୁ କହିଲେ, “ମୋହର ଆଗମନ ପର୍ଯ୍ୟନ୍ତ ସେ ରହୁ ବୋଲି ଯଦି ମୁଁ ଇଚ୍ଛା କରେ, ତାହାହେଲେ ସେଥିରେ ତୁମ୍ଭର କଅଣ ଅଛି? ତୁମ୍ଭେ ମୋହର ଅନୁଗାମୀ ହୁଅ।” 23ସେଥିରେ ସେହି ଶିଷ୍ୟ ଯେ ମରିବ ନାହିଁ, ଭାଇମାନଙ୍କ ମଧ୍ୟରେ ଏହି କଥା ବ୍ୟାପିଗଲା, ମାତ୍ର ସେ ମରିବ ନାହିଁ ବୋଲି ଯୀଶୁ ତାହାଙ୍କୁ କହି ନ ଥିଲେ, “କିନ୍ତୁ ମୋହର ଆଗମନ ପର୍ଯ୍ୟନ୍ତ ସେ ରହୁ ବୋଲି ଯଦି ମୁଁ ଇଚ୍ଛା କରେ, ତାହାହେଲେ ସେଥିରେ ତୁମ୍ଭର କଅଣ ଅଛି” ବୋଲି କହିଥିଲେ। 24ଯେ ଏହି ସମସ୍ତ ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି ଓ ଏହି ସମସ୍ତ ଲେଖିଅଛନ୍ତି, ସେ ସେହି ଶିଷ୍ୟ; ଆଉ, ତାହାଙ୍କ ସାକ୍ଷ୍ୟ ଯେ ସତ୍ୟ, ତାହା ଆମ୍ଭେମାନେ ଜାଣୁ। 25ପୁଣି, ଯୀଶୁ ଆହୁରି ଅନେକ ଅନେକ କର୍ମ ମଧ୍ୟ କରିଥିଲେ; ସେହିସବୁ ଯଦି ଗୋଟି ଗୋଟି କରି ଲେଖା ଯାଆନ୍ତା, ତାହାହେଲେ ଏତେ ପୁସ୍ତକ ଲେଖା ହୁଅନ୍ତା ଯେ, ମୋହର ବିଚାରରେ ସମୁଦାୟ ଜଗତରେ ସୁଦ୍ଧା ସେହିସବୁ ରଖିବା ନିମନ୍ତେ ସ୍ଥାନ ହୁଅନ୍ତା ନାହିଁ।

ପତ୍ର

ପ୍ର.ତୀମ 4:4–8, 16

4କାରଣ ଈଶ୍ବରଙ୍କ ସମସ୍ତ ସୃଷ୍ଟ ବସ୍ତୁ ଉତ୍ତମ, ପୁଣି, ଧନ୍ୟବାଦ ସହ ଗ୍ରହଣ କଲେ କୌଣସି ବିଷୟ ଅଗ୍ରହଣୀୟ ନୁହେଁ, 5ଯେଣୁ ଈଶ୍ବରଙ୍କ ବାକ୍ୟ ଓ ପ୍ରାର୍ଥନା ଦ୍ୱାରା ତାହା ପବିତ୍ର କରାଯାଏ। 6ଏହି ସମସ୍ତ ବିଷୟ ତୁମ୍ଭେ ଭାଇମାନଙ୍କୁ ଶିକ୍ଷା ଦେଲେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ଉତ୍ତମ ସେବକ ହେବ, ପୁଣି, ତୁମ୍ଭେ ଯେଉଁ ବିଶ୍ୱାସ ଓ ଉତ୍ତମ ଶିକ୍ଷାର ଅନୁଗାମୀ ହୋଇ ଆସିଅଛ, ସେହି ବାକ୍ୟ ଦ୍ୱାରା ପରିପୁଷ୍ଟ ହେବ; 7କିନ୍ତୁ ବୟସ୍କା ସ୍ତ୍ରୀଲୋକମାନଙ୍କର ଅସାର କହାଣୀସବୁ ଗ୍ରହଣ କର ନାହିଁ। ଈଶ୍ବରପରାୟଣ ଜୀବନଯାପନ କରିବା ନିମନ୍ତେ ଅଭ୍ୟାସ କର, 8କାରଣ ଶାରୀରିକ ବ୍ୟାୟାମ ଅଳ୍ପ ବିଷୟରେ ଲାଭଜନକ, କିନ୍ତୁ ଈଶ୍ବରପରାୟଣତା ଇହକାଳ ଓ ପରକାଳରେ ପ୍ରତିଜ୍ଞାଯୁକ୍ତ ହୋଇ ସମସ୍ତ ବିଷୟରେ ଲାଭଜନକ ଅଟେ। 16ଆପଣା ବିଷୟରେ ଓ ଆପଣା ଶିକ୍ଷା ବିଷୟରେ ସତର୍କ ହୁଅ, ଏହି ସମସ୍ତ ବିଷୟରେ ଲାଗି ରୁହ, କାରଣ ତାହା କଲେ ତୁମ୍ଭେ ଆପଣା ପରିତ୍ରାଣ ଓ ତୁମ୍ଭର ଶ୍ରୋତାମାନଙ୍କର ପରିତ୍ରାଣ ମଧ୍ୟ ସାଧନ କରିବ।

ପତ୍ର (ସନ୍ଥ ଫିଲିପ୍ପଙ୍କ ପାଇଁ)

ପ୍ର.କରି 4:9–16

9କାରଣ ମୋହର ମନେ ହୁଏ, ଆମ୍ଭେମାନେ ଯେ ପ୍ରେରିତ, ଆମ୍ଭମାନଙ୍କୁ ଈଶ୍ବର ମୃତ୍ୟୁମୁଖରେ ସମର୍ପିତ ସର୍ବଶେଷର ଲୋକମାନଙ୍କ ସଦୃଶ ପ୍ରଦର୍ଶନ କରିଅଛନ୍ତି, ଯେଣୁ ଆମ୍ଭେମାନେ ଜଗତ, ଦୂତ ଓ ମନୁଷ୍ୟମାନଙ୍କ ନିକଟରେ କୌତୁକର ବିଷୟ ହୋଇଅଛୁ। 10ଆମ୍ଭେମାନେ ଖ୍ରୀଷ୍ଟଙ୍କ ନିମନ୍ତେ ମୂର୍ଖ, କିନ୍ତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ବୁଦ୍ଧିମାନ; ଆମ୍ଭେମାନେ ଦୁର୍ବଳ, କିନ୍ତୁ ତୁମ୍ଭେମାନେ ବଳବାନ; ତୁମ୍ଭେମାନେ ଗୌରବପ୍ରାପ୍ତ, କିନ୍ତୁ ଆମ୍ଭେମାନେ ଅନାଦୃତ। 11ଏ ସମୟ ପର୍ଯ୍ୟନ୍ତ ସୁଦ୍ଧା ଆମ୍ଭେମାନେ କ୍ଷୁଧିତ ଓ ତୃଷିତ, ବସ୍ତ୍ରହୀନ ଓ ପ୍ରହାରିତ ହେଉଅଛୁ, ପୁଣି, ନିରାଶ୍ରୟ ହୋଇ ଭ୍ରମଣ କରୁ କରୁ 12ସ୍ୱହସ୍ତରେ କର୍ମ କରି ପରିଶ୍ରମ କରୁଅଛୁ, ନିନ୍ଦିତ ହୋଇ ଆଶୀର୍ବାଦ କରୁଅଛୁ, ତାଡ଼ନା ପ୍ରାପ୍ତ ହୋଇ ସହ୍ୟ କରୁଅଛୁ, 13ଅପବାଦିତ ହୋଇ ମିଳନର କଥା କହୁଅଛୁ; ଏପର୍ଯ୍ୟନ୍ତ ସୁଦ୍ଧା ଆମ୍ଭେମାନେ ଜଗତର ଆବର୍ଜନା, ସମସ୍ତଙ୍କର କଳଙ୍କ ସ୍ୱରୂପ ହୋଇଅଛୁ। 14ମୁଁ ତୁମ୍ଭମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଏହି ସମସ୍ତ ବିଷୟ ଲେଖୁ ନାହିଁ, କିନ୍ତୁ ମୋହର ପ୍ରିୟ ସନ୍ତାନ ବୋଲି ମନେ କରି ତୁମ୍ଭମାନଙ୍କୁ ଚେତନା ଦେବା ନିମନ୍ତେ ଏହି ସମସ୍ତ ଲେଖୁଅଛି। 15କାରଣ ଯଦ୍ୟପି ଖ୍ରୀଷ୍ଟଙ୍କ ବିଷୟରେ ତୁମ୍ଭମାନଙ୍କର ଦଶ ସହସ୍ର ଶିକ୍ଷକ ଥାଆନ୍ତେ, ତଥାପି ତୁମ୍ଭମାନଙ୍କର ଅନେକ ପିତା ନାହାନ୍ତି; କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ମୁଁ ତୁମ୍ଭମାନଙ୍କୁ ସୁସମାଚାର ଦ୍ୱାରା ଜନ୍ମ ଦେଇଅଛି। 16ଏଣୁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରେ, ତୁମ୍ଭେମାନେ ମୋହର ଅନୁକାରୀ ହୁଅ।

ସୁସମାଚାର

ଲୂକ 13:31–35

31ସେହି ଦଣ୍ଡରେ କେତେକ ଫାରୂଶୀ ତାହାଙ୍କ ପାଖକୁ ଆସି କହିଲେ, ଏ ସ୍ଥାନ ଛାଡ଼ି ବାହାରି ଯାଉନ୍ତୁ, କାରଣ ହେରୋଦ ଆପଣଙ୍କୁ ମାରିବା ପାଇଁ ଇଚ୍ଛା କରୁଅଛନ୍ତି। 32ସେଥିରେ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯାଇ ସେହି କୋକିଶିଆଳିକି କୁହ, ‘ଦେଖ, ମୁଁ ଆଜି ଓ କାଲି ଭୂତ ଛଡ଼ାଉଅଛି ଓ ସୁସ୍ଥ କରୁଅଛି, ପୁଣି, ତୃତୀୟ ଦିନରେ ମୁଁ ସିଦ୍ଧ ହେବି।’ 33ଯାହା ହେଉ, ଆଜି, କାଲି ଓ ପଅର ଦିନ ମୋତେ ଯାତ୍ରା କରିବାକୁ ହେବ, କାରଣ ଯିରୂଶାଲମ ସହରର ବାହାରେ ଭାବବାଦୀର ନିହତ ହେବା ଉଚିତ୍ ନୁହେଁ।” 34“ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷ ତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେହିପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ। 35ଦେଖ, ତୁମ୍ଭମାନଙ୍କ ଘର ତୁମ୍ଭମାନଙ୍କ ହାତରେ ଛାଡ଼ି ଦିଆଯାଉଅଛି; ଆଉ, ମୁଁ ତୁମ୍ଭମାନଙ୍କୁ କହୁଅଛି, ‘ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ,’ ତୁମ୍ଭେମାନେ ଯେଉଁ ଦିନ ଏହି କଥା କହିବ, ସେହି ଦିନ ନ ଆସିବା ପର୍ଯ୍ୟନ୍ତ ମୋତେ ନିଶ୍ଚୟ ଆଉ ଦେଖିବ ନାହିଁ।”

ସୁସମାଚାର (ସନ୍ଥ ଫିଲିପ୍ପଙ୍କ ପାଇଁ)

ଯୋହ 1:43–51

43ତହିଁ ଆରଦିନ ଯୀଶୁ ଗାଲିଲୀକୁ ବାହାରିଯିବା ପାଇଁ ଇଚ୍ଛା କଲେ, ଆଉ ସେ ଫିଲିପ୍ପଙ୍କ ଦେଖା ପାଇ ତାହାଙ୍କୁ କହିଲେ, “ମୋହର ଅନୁଗମନ କର।” 44ଫିଲିପ୍ପ ବେଥ୍‌ସାଇଦାର ଲୋକ ଥିଲେ, ତାହା ଆନ୍ଦ୍ରିୟ ଓ ପିତରଙ୍କର ନଗର ଥିଲା। 45ଫିଲିପ୍ପ ନିଥନିୟେଲଙ୍କୁ ଦେଖା ପାଇ ତାହାଙ୍କୁ କହିଲେ, ଯାହାଙ୍କ ବିଷୟରେ ମୋଶା ବ୍ୟବସ୍ଥାରେ ଲେଖିଅଛନ୍ତି, ପୁଣି, ଭାବବାଦୀମାନେ ମଧ୍ୟ ଲେଖିଅଛନ୍ତି, ଆମ୍ଭେମାନେ ତାହାଙ୍କର ଦେଖା ପାଇଅଛୁ; ସେ ଯୋଷେଫଙ୍କ ପୁତ୍ର ନାଜରିତୀୟ ଯୀଶୁ। 46ନିଥନିୟେଲ ତାହାଙ୍କୁ ପଚାରିଲେ, “ନାଜରିତରୁ କି କୌଣସି ଉତ୍ତମ ବିଷୟ ଉତ୍ପନ୍ନ ହୋଇପାରେ?” ଫିଲିପ୍ପ ତାହାଙ୍କୁ କହିଲେ, “ଆସି ଦେଖ।” 47ଯୀଶୁ ନିଥନିୟେଲଙ୍କୁ ଆପଣା ନିକଟକୁ ଆସୁଥିବା ଦେଖି ତାହାଙ୍କ ବିଷୟରେ କହିଲେ, “ଏହି ଦେଖ, ପ୍ରକୃତରେ ଏ ଜଣେ ଇସ୍ରାଏଲୀୟ ଲୋକ, ଏହାଙ୍କଠାରେ ଛଳନା ନାହିଁ।” 48ନିଥନିୟେଲ ତାହାଙ୍କୁ ପଚାରିଲେ, ଆପଣ ମୋତେ କିପରି ଚିହ୍ନିଲେ? ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଫିଲିପ୍ପ ତୁମ୍ଭକୁ ଡାକିବା ପୂର୍ବେ ତୁମ୍ଭେ ଯେତେବେଳେ ଡିମ୍ବିରିବୃକ୍ଷ ତଳେ ଥିଲ, ସେତେବେଳେ ମୁଁ ତୁମ୍ଭକୁ ଦେଖିଥିଲି।” 49ନିଥନିୟେଲ ତାହାଙ୍କୁ ଉତ୍ତର ଦେଲେ, ହେ ଗୁରୁ ଆପଣ ଈଶ୍ବରଙ୍କ ପୁତ୍ର, ଆପଣ ଇସ୍ରାଏଲର ରାଜା। 50ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ମୁଁ ତୁମ୍ଭକୁ ଡିମ୍ବିରିବୃକ୍ଷ ତଳେ ଦେଖିଥିଲି ବୋଲି କହିବାରୁ କି ତୁମ୍ଭେ ବିଶ୍ୱାସ କରୁଅଛ? ତୁମ୍ଭେ ଏହାଠାରୁ ଆହୁରି ମହତ‍୍-ମହତ‍୍ ବିଷୟ ଦେଖିବ।” 51ପୁଣି, ସେ ତାହାଙ୍କୁ କହିଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ସ୍ୱର୍ଗକୁ ଉନ୍ମୁକ୍ତ ଓ ଈଶ୍ବରଙ୍କ ଦୂତମାନଙ୍କୁ ମନୁଷ୍ୟପୁତ୍ରଙ୍କ ଉପରେ ଆରୋହଣ ଓ ଅବତରଣ କରିବା ଦେଖିବ।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ନଭେମ୍ବର 14 ନାଗରିକ ପଞ୍ଜିକାର ନଭେମ୍ବର 27। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର