Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2026 › ନଭେମ୍ବର 29

ଅର୍ଥୋଡକ୍ସ ପଞ୍ଜିକା · 16 ନଭେମ୍ବର (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 29 ନଭେମ୍ବର 2026

ରବିବାର · ସ୍ୱର 1

ପର୍ବ ଓ ସନ୍ଥ

ପେଣ୍ଟିକଷ୍ଟ ପରେ 26ତମ ରବିବାର

ଜନ୍ମ ପର୍ବର ଉପବାସ

ମାଛ ଚଳିବ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ସନ୍ଧ୍ୟା ପ୍ରାର୍ଥନା: ପାଠ

ପ୍ର. ପିତ 1:1–2:6

1ପିତର, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ପ୍ରେରିତ, ପନ୍ତ, ଗାଲାତୀୟ, କାପ୍ପାଦକିଆ, ଏସିଆ ଓ ବୀଥୂନିଆ ଅଞ୍ଚଳଗୁଡ଼ିକରେ ଛିନ୍ନଭିନ୍ନ ଯେଉଁ ପ୍ରବାସୀମାନେ, 2ପିତା ଈଶ୍ବରଙ୍କ ପୂର୍ବ ଜ୍ଞାନାନୁସାରେ ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ଆଜ୍ଞାବହ, ପୁଣି, ଯୀଶୁ ଖ୍ରୀଷ୍ଟଙ୍କର ରକ୍ତରେ ସିଞ୍ଚିତ ହେବା ନିମନ୍ତେ ମନୋନୀତ ହୋଇଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି। ତୁମ୍ଭମାନଙ୍କ ପ୍ରତି ପ୍ରଚୁର ରୂପେ ଅନୁଗ୍ରହ ଓ ଶାନ୍ତି ହେଉ। 3ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ; ସେ ମୃତମାନଙ୍କ ମଧ୍ୟରୁ ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଜୀବନଦାୟକ ଭରସା ପ୍ରାପ୍ତି ନିମନ୍ତେ, 4ଅର୍ଥାତ୍‍ ଯେଉଁ ଅକ୍ଷୟ, ଅକଳଙ୍କିତ, ଅଜର ଅଧିକାର ତୁମ୍ଭମାନଙ୍କ ନିମନ୍ତେ ସ୍ୱର୍ଗରେ ସଞ୍ଚିତ ହୋଇଅଛି, ତାହା ପାଇବା ନିମନ୍ତେ ଆପଣାର ମହାଦୟାରେ ଆମ୍ଭମାନଙ୍କୁ ନୂତନ ଜନ୍ମ ଦେଇଅଛନ୍ତି। 5ଯେଉଁ ପରିତ୍ରାଣ ଶେଷକାଳରେ ପ୍ରକାଶିତ ହେବା ପାଇଁ ପ୍ରସ୍ତୁତ ହୋଇଅଛି, ସେଥିନିମନ୍ତେ ତୁମ୍ଭେମାନେ ଈଶ୍ବରଙ୍କ ଶକ୍ତିରେ ବିଶ୍ୱାସ ଦ୍ୱାରା ସୁରକ୍ଷିତ ହେଉଅଛ। 6ଏଥିରେ ତୁମ୍ଭେମାନେ ଆନନ୍ଦ କରୁଅଛ, ତଥାପି ବର୍ତ୍ତମାନ ଅଳ୍ପ ସମୟ ପାଇଁ ନାନା ପରୀକ୍ଷା ଦ୍ୱାରା ଦୁଃଖଭୋଗ କରିବା ତୁମ୍ଭମାନଙ୍କ ପକ୍ଷରେ ଆବଶ୍ୟକ ହୁଏ, 7ଯେପରି ଅଗ୍ନି ଦ୍ୱାରା ପରୀକ୍ଷିତ କ୍ଷୟଣୀୟ ସୁବର୍ଣ୍ଣ ଅପେକ୍ଷା ଅଧିକ ବହୁମୂଲ୍ୟ ଯେ ତୁମ୍ଭମାନଙ୍କର ପରୀକ୍ଷାସିଦ୍ଧ ବିଶ୍ୱାସ, ତାହା ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ପ୍ରଶଂସା, ଗୌରବ ଓ ସମ୍ଭ୍ରମର କାରଣ ହେବ। 8ତୁମ୍ଭେମାନେ ତାହାଙ୍କୁ ନ ଦେଖି ପ୍ରେମ କରୁଅଛ, ପୁଣି, ଏବେ ସୁଦ୍ଧା ନ ଦେଖିଲେ ହେଁ ତାହାଙ୍କଠାରେ ବିଶ୍ୱାସ କରି ଅକଥନୀୟ ଓ ଗୌରବଯୁକ୍ତ ଆନନ୍ଦରେ 9ଆନନ୍ଦିତ ହୋଇ ତୁମ୍ଭମାନଙ୍କ ବିଶ୍ୱାସର ଫଳ ଯେ ଆତ୍ମାର ପରିତ୍ରାଣ, ତାହା ପାଉଅଛ। ଭାବବାଦୀମାନେ ତୁମ୍ଭମାନଙ୍କ ନିମନ୍ତେ ନିରୂପିତ ଅନୁଗ୍ରହ ବିଷୟରେ ଭାବବାଣୀ ପ୍ରକାଶ କଲେ, 10ପୁଣି, ସେହି ପରିତ୍ରାଣ ସମ୍ବନ୍ଧରେ ଯତ୍ନ ସହକାରେ ଅନ୍ୱେଷଣ ଓ ଅନୁସନ୍ଧାନ କଲେ। 11ଖ୍ରୀଷ୍ଟଙ୍କ ଦୁଃଖଭୋଗ ଓ ତତ୍ପରବର୍ତ୍ତୀ ଗୌରବ ବିଷୟରେ ପୂର୍ବରୁ ପ୍ରମାଣଦାତା ଯେ ସେମାନଙ୍କର ମଧ୍ୟବର୍ତ୍ତୀ ଖ୍ରୀଷ୍ଟଙ୍କର ଆତ୍ମା, ସେ କେଉଁ କାଳକୁ ଲକ୍ଷ୍ୟ କରୁଅଛନ୍ତି, ତାହା ସେମାନେ ଅନୁସନ୍ଧାନ କଲେ। 12ଏହି ସମସ୍ତ ବିଷୟରେ ସେମାନେ ଯେ ଆପଣା ଆପଣାର ସେବା ନ କରି ତୁମ୍ଭମାନଙ୍କର ସେବା କରୁଥିଲେ, ଏହା ସେମାନଙ୍କ ନିକଟରେ ପ୍ରକାଶିତ ହୋଇଥିଲା, ଆଉ, ସେହି ସମସ୍ତ ବିଷୟ ସ୍ୱର୍ଗରୁ ପ୍ରେରିତ ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାରକମାନଙ୍କ ଦ୍ୱାରା ଏବେ ତୁମ୍ଭମାନଙ୍କୁ ଜଣାଇ ଦିଆଯାଇଅଛି; ସେହିସବୁ ବିଷୟ ଦୂତମାନେ ମଧ୍ୟ ନିରୀକ୍ଷଣ କରିବାକୁ ଇଚ୍ଛା କରନ୍ତି। 13ଅତଏବ, ଆପଣା ଆପଣା ମନରୂପ କଟି ବନ୍ଧନ କରି ସଚେତନ ଥାଅ, ପୁଣି, ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ଯେଉଁ ଅନୁଗ୍ରହ ତୁମ୍ଭମାନଙ୍କ ପ୍ରତି ବର୍ତ୍ତିବ, ସେଥିରେ ସମ୍ପୂର୍ଣ୍ଣ ରୂପେ ଭରସା ରଖ। 14ତୁମ୍ଭମାନଙ୍କ ପୂର୍ବ ଅଜ୍ଞାନତା ସମୟର କୁଅଭିଳାଷର ଅନୁରୂପୀ ହୁଅ ନାହିଁ, 15ମାତ୍ର ତୁମ୍ଭମାନଙ୍କର ଆହ୍ୱାନକର୍ତ୍ତା ଯେପରି ପବିତ୍ର, ତୁମ୍ଭେମାନେ ମଧ୍ୟ ଆଜ୍ଞାବହ ସନ୍ତାନମାନଙ୍କ ପରି ସମସ୍ତ ଆଚରଣରେ ସେହିପରି ପବିତ୍ର ହୁଅ। 16ଯେଣୁ ପବିତ୍ର ଶାସ୍ତ୍ରରେ ଲେଖାଅଛି, ତୁମ୍ଭେମାନେ ପବିତ୍ର ହୁଅ, କାରଣ ଆମ୍ଭେ ପବିତ୍ର। 17ଆଉ ଯେ ମୁଖାପେକ୍ଷା ନ କରି ପ୍ରତ୍ୟେକ ଲୋକର କର୍ମାନୁସାରେ ବିଚାର କରନ୍ତି, ତାହାଙ୍କୁ ଯଦି ପିତା ବୋଲି ସମ୍ବୋଧନ କରୁଅଛ, ତେବେ ଆପଣା ଆପଣାର ପ୍ରବାସକାଳ ଭୟ ସହକାରେ କ୍ଷେପଣ କର; 18ଯେଣୁ ତୁମ୍ଭେମାନେ ଜାଣ ଯେ, ତୁମ୍ଭମାନଙ୍କ ପିତୃ-ପୁରୁଷମାନଙ୍କଠାରୁ ପ୍ରାପ୍ତ ପରମ୍ପରାଗତ ନିରର୍ଥକ ଆଚାର-ବ୍ୟବହାରରୁ ରୂପା କି ସୁନା ପରି କ୍ଷୟଣୀୟ ବସ୍ତୁ ଦ୍ୱାରା ମୁକ୍ତ ନ ହୋଇ 19ବରଂ ନିଖୁନ୍ତ ଓ ନିଷ୍କଳଙ୍କ ମେଷଶାବକ ସଦୃଶ ଖ୍ରୀଷ୍ଟଙ୍କ ବହୁମୂଲ୍ୟ ରକ୍ତରେ ମୁକ୍ତ ହୋଇଅଛ। 20ସେ ଜଗତର ପତ୍ତନ ପୂର୍ବରୁ ନିରୂପିତ ହୋଇ ତୁମ୍ଭମାନଙ୍କ ନିମନ୍ତେ ଏହି ଶେଷକାଳରେ ପ୍ରକାଶିତ ହୋଇଅଛନ୍ତି; 21ଯେଉଁ ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ଗୌରବାନ୍ୱିତ କରିଅଛନ୍ତି, ସେହି ଈଶ୍ବରଙ୍କଠାରେ ତୁମ୍ଭେମାନେ ତାହାଙ୍କ ଦ୍ୱାରା ବିଶ୍ୱାସ କରୁଅଛ, ଏଣୁ ଈଶ୍ବର ତୁମ୍ଭମାନଙ୍କର ବିଶ୍ୱାସ ଓ ଭରସାର ସ୍ଥାନ ଅଟନ୍ତି। 22ତୁମ୍ଭେମାନେ ସତ୍ୟର ଆଜ୍ଞାବହ ହୋଇ ନିଷ୍କପଟ ଭ୍ରାତୃପ୍ରେମ ନିମନ୍ତେ ଆପଣା ଆପଣା ଆତ୍ମାକୁ ଶୁଚି କରିଥିବାରୁ ଅନ୍ତର ସହ ଏକାଗ୍ରଭାବେ ପରସ୍ପରକୁ ପ୍ରେମ କର; 23ଯେଣୁ ତୁମ୍ଭେମାନେ କ୍ଷୟଣୀୟ ବୀଜରୁ ନୁହେଁ, ବରଂ ଅକ୍ଷୟ ବୀଜରୁ, ଅର୍ଥାତ୍‍ ଈଶ୍ବରଙ୍କ ଜୀବନ୍ତ ଓ ନିତ୍ୟସ୍ଥାୟୀ ବାକ୍ୟ ଦ୍ୱାରା ନୂତନୀକୃତ ହୋଇଅଛ। 24କାରଣ ପବିତ୍ର ଶାସ୍ତ୍ରରେ ଯେପରି ଲେଖାଅଛି, “ସମସ୍ତ ମର୍ତ୍ତ୍ୟ ତୃଣ ତୁଲ୍ୟ, ତାହାର ସମସ୍ତ ଶୋଭା ତୃଣର ପୁଷ୍ପ ସଦୃଶ; ତୃଣ ଶୁଖିଯାଏ, ଆଉ ଫୁଲ ଝଡ଼ିପଡ଼େ, 25କିନ୍ତୁ ଈଶ୍ବରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ।” ଏହା ସେହି ସୁସମାଚାରର ବାକ୍ୟ, ଯାହା ତୁମ୍ଭମାନଙ୍କ ନିକଟରେ ପ୍ରଚାରିତ ହୋଇଅଛି। 2:1ଅତଏବ ପ୍ରଭୁ ଯେ ମଙ୍ଗଳମୟ, ଏହା ଯଦି ଆସ୍ୱାଦନ କରିଅଛ, 2ତାହାହେଲେ ସମସ୍ତ ପ୍ରକାର ଦୁଷ୍ଟତା, ଛଳ, କପଟ, ଈର୍ଷା ଓ ପରନିନ୍ଦା ପରିତ୍ୟାଗ କରି 3ନବଜାତ ଶିଶୁତୁଲ୍ୟ ପାରମାର୍ଥିକ ଅମିଶ୍ରିତ ଦୁଗ୍ଧ ପାନ କରିବାକୁ ଇଚ୍ଛା କର, ଯେପରି ତଦ୍ୱାରା ପରିତ୍ରାଣାର୍ଥେ ବୃଦ୍ଧି ପାଇପାର। 4ଜୀବନ୍ତ ପ୍ରସ୍ତର ସ୍ୱରୂପ ଯେ ସେହି ପ୍ରଭୁ, ସେ ମନୁଷ୍ୟମାନଙ୍କ ଦ୍ୱାରା ଅଗ୍ରାହ୍ୟ ହେଲେ ସତ, କିନ୍ତୁ ଈଶ୍ବରଙ୍କ ନିକଟରେ ମନୋନୀତ ଓ ବହୁମୂଲ୍ୟ ଅଟନ୍ତି, 5ତାହାଙ୍କ ନିକଟକୁ ଆସି ତୁମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବରଙ୍କ ନିକଟରେ ସୁଗ୍ରାହ୍ୟ ଆତ୍ମିକ ବଳି ଉତ୍ସର୍ଗ କରିବା ନିମନ୍ତେ ପବିତ୍ର ଯାଜକବର୍ଗ ହେବା ପାଇଁ ଜୀବନ୍ତ ପ୍ରସ୍ତର ସ୍ୱରୂପ ହୋଇ ଗୋଟିଏ ଆତ୍ମିକ ଗୃହରୂପରେ ନିର୍ମିତ ହୁଅ। 6କାରଣ ଶାସ୍ତ୍ରରେ ଲିଖିତ ଅଛି, “ଦେଖ, ଆମ୍ଭେ ସିୟୋନରେ ଗୋଟିଏ ମନୋନୀତ, ଓ ବହୁମୂଲ୍ୟ କୋଣର ପ୍ରଧାନ ପ୍ରସ୍ତର ସ୍ଥାପନ କରୁଅଛୁ, ଆଉ ଯେ ତାହାଙ୍କଠାରେ ବିଶ୍ୱାସ କରିବ, ସେ ଲଜ୍ଜିତ ହେବ ନାହିଁ।”

ସନ୍ଧ୍ୟା ପ୍ରାର୍ଥନା: ପାଠ

ପ୍ର. ପିତ 2:21–3:9

21ଏଥିନିମନ୍ତେ ହିଁ ତୁମ୍ଭେମାନେ ଆହୂତ ହୋଇଅଛ, କାରଣ ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ପଦଚିହ୍ନ ଦେଇ ଗମନ କର, ସେଥିପାଇଁ ସେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ଦୁଃଖଭୋଗ କରି ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଦେଇ ଯାଇଅଛନ୍ତି; 22“ସେ କୌଣସି ପାପ କଲେ ନାହିଁ, କିଅବା ତାହାଙ୍କ ମୁଖରେ କୌଣସି ଛଳକଥା ନ ଥିଲା।” 23ସେ ନିନ୍ଦା ପାଇବା ବଦଳରେ ଫେରି ନିନ୍ଦା କଲେ ନାହିଁ; ଦୁଃଖଭୋଗ ସହ୍ୟ କରିବା ବଦଳରେ ପ୍ରତିହିଂସା କରିବାକୁ ଭୟ ଦେଖାଇଲେ ନାହିଁ, କିନ୍ତୁ ନ୍ୟାୟବିଚାରକର୍ତ୍ତା ଈଶ୍ବରଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କଲେ; 24ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନଯାପନ କରୁ, ଏଥିନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ। 25କାରଣ ତୁମ୍ଭେମାନେ ମେଷ ତୁଲ୍ୟ ବିପଥଗାମୀ ହୋଇଥିଲ, କିନ୍ତୁ ଏବେ ତୁମ୍ଭମାନଙ୍କ ଆତ୍ମାର ପାଳକ ଓ ଅଧ୍ୟକ୍ଷଙ୍କ ନିକଟକୁ ବାହୁଡ଼ି ଆସିଅଛ। 3:1ସେହିପରି, ହେ ଭାର୍ଯ୍ୟାମାନେ, ତୁମ୍ଭେମାନେ ଆପଣା ଆପଣା ସ୍ୱାମୀଙ୍କର ବଶୀଭୂତା ହୁଅ, 2ଯେପରି ସେମାନଙ୍କ ମଧ୍ୟରୁ କେହି କେହି ବାକ୍ୟର ଅନାଜ୍ଞାବହ ହେଲେ ସୁଦ୍ଧା ତୁମ୍ଭମାନଙ୍କର ସଭୟ ସଦାଚରଣ ଦେଖି ବାକ୍ୟ ବିନୁ ଆପଣା ଆପଣା ଭାର୍ଯ୍ୟାର ଆଚରଣ ଦ୍ୱାରା ପରିବର୍ତ୍ତିତ ହେବେ। 3ପୁଣି, କେଶବେଶ, ସୁବର୍ଣ୍ଣ ଆଭରଣ ଓ ସୁନ୍ଦର ବସ୍ତ୍ର ପରିଧାନ, ଏପରି ଯେଉଁ ବାହ୍ୟ ଭୂଷଣ, ତାହା ତୁମ୍ଭମାନଙ୍କର ଭୂଷଣ ନ ହୋଇ, 4ହୃଦୟର ଯେଉଁ କୋମଳ ଓ ଶାନ୍ତିଯୁକ୍ତ ଗୁପ୍ତ ସ୍ୱଭାବ ଈଶ୍ବରଙ୍କ ଦୃଷ୍ଟିରେ ବହୁମୂଲ୍ୟ, ତାହା ହିଁ ତୁମ୍ଭମାନଙ୍କର ଅକ୍ଷୟ ଭୂଷଣ ହେଉ। 5କାରଣ ପୂର୍ବକାଳରେ ସାଧ୍ୱୀ ସ୍ତ୍ରୀମାନେ ମଧ୍ୟ ଈଶ୍ବରଙ୍କଠାରେ ଭରସା ରଖି ଆପଣା ଆପଣା ସ୍ୱାମୀଙ୍କର ବଶୀଭୂତା ହୋଇ ଏହି ପ୍ରକାରେ ଆପଣା ଆପଣାକୁ ଭୂଷିତା କରୁଥିଲେ। 6ସେହିପରି ସାରା ଅବ୍ରହାମଙ୍କୁ ପ୍ରଭୁ ବୋଲି କହି ତାହାଙ୍କର ଆଜ୍ଞାବହ ହେଲେ; ତୁମ୍ଭେମାନେ ଯଦି କୌଣସି ବିଷୟରେ ଭୀତ ନ ହୋଇ ସଦାଚରଣ କର, ତେବେ ତୁମ୍ଭେମାନେ ହିଁ ତାହାଙ୍କର ସନ୍ତାନ। 7ସେହି ପ୍ରକାରେ, ହେ ସ୍ୱାମୀମାନେ, ତୁମ୍ଭମାନଙ୍କ ପ୍ରାର୍ଥନାରେ ଯେପରି ବାଧା ନ ଜନ୍ମେ, ଏଥିନିମନ୍ତେ ସ୍ତ୍ରୀମାନଙ୍କୁ ଅପେକ୍ଷାକୃତ ଦୁର୍ବଳା-ପାତ୍ରୀ ଓ ଆପଣାମାନଙ୍କ ସହିତ ଜୀବନରୂପ ଅନୁଗ୍ରହଦାନର ସହାଧିକାରିଣୀ ଜାଣି ସେମାନଙ୍କୁ ସମାଦର କର, ପୁଣି, ଜ୍ଞାନରେ ସେମାନଙ୍କର ସହିତ ବାସ କର। 8ଶେଷ କଥା ଏହି, ତୁମ୍ଭେମାନେ ସମସ୍ତେ ଏକମନା, ପରସ୍ପରର ସୁଖଦୁଃଖର ସହଭାଗୀ, ଭ୍ରାତୃପ୍ରେମରେ ପ୍ରେମୀ, କୋମଳ ହୃଦୟ ଓ ନମ୍ରଚିତ୍ତ ହୁଅ; 9ଅନିଷ୍ଟ ପରିବର୍ତ୍ତେ ଅନିଷ୍ଟ କିଅବା ନିନ୍ଦାର ପରିବର୍ତ୍ତେ ନିନ୍ଦା ନ କରି ଅନ୍ୟ ପକ୍ଷରେ ବରଂ ଆଶୀର୍ବାଦ କର, କାରଣ ତୁମ୍ଭେମାନେ ଯେପରି ଆଶୀର୍ବାଦର ଅଧିକାରୀ ହୁଅ, ଏଥିପାଇଁ ଆହୂତ ହୋଇଅଛ।

ସନ୍ଧ୍ୟା ପ୍ରାର୍ଥନା: ପାଠ

ପ୍ର. ପିତ 4:1–11

1ଖ୍ରୀଷ୍ଟ ଶରୀରରେ ଦୁଃଖଭୋଗ କରିଥିବାରୁ ତୁମ୍ଭେମାନେ ମଧ୍ୟ ସେହିପରି ମନ ଧରି ଆପଣାମାନଙ୍କୁ ସୁସଜ୍ଜିତ କର, କାରଣ ଯେ, ଶରୀରରେ ଦୁଃଖଭୋଗ କରିଅଛି, ସେ ପାପରୁ ନିବୃତ୍ତ ହୋଇଅଛି, 2ଯେପରି ତୁମ୍ଭେମାନେ ଜାଗତିକ ଜୀବନର ଅବଶିଷ୍ଟ କାଳ ମନୁଷ୍ୟର କୁଅଭିଳାଷ ଅନୁସାରେ କ୍ଷେପଣ ନ କରି ଈଶ୍ବରଙ୍କ ଇଚ୍ଛାନୁସାରେ କ୍ଷେପଣ କର। 3ଯେଣୁ ଅଣଯିହୁଦୀମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ତୁମ୍ଭେମାନେ ଯେତେକାଳ କାମୁକତା, କୁଅଭିଳାଷ, ମଦ୍ୟପାନ, ରଙ୍ଗରସ, ମତ୍ତତା ଓ ଘୃଣ୍ୟ ପ୍ରତିମାପୂଜା କରୁଥିଲ, ତାହା ଯଥେଷ୍ଟ; 4ଏପ୍ରକାର ଉଚ୍ଛୃଙ୍ଖଳ ପନ୍ଥାରେ ତୁମ୍ଭେମାନେ ଯେ ସେମାନଙ୍କ ସହିତ ଧାବମାନ ହେଉ ନାହଁ, ଏହା ସେମାନେ ଆଶ୍ଚର୍ଯ୍ୟ ମଣି ତୁମ୍ଭମାନଙ୍କର ନିନ୍ଦା କରନ୍ତି; 5କିନ୍ତୁ ଯେ ଜୀବିତ ଓ ମୃତ ଲୋକମାନଙ୍କର ବିଚାର କରିବାକୁ ଉଦ୍ୟତ, ସେହି ଈଶ୍ବରଙ୍କ ଛାମୁରେ ସେମାନଙ୍କୁ ହିସାବ ଦେବାକୁ ହେବ। 6କାରଣ ଏହି ଉଦ୍ଦେଶ୍ୟରେ ମୃତମାନଙ୍କ ନିକଟରେ ମଧ୍ୟ ସୁସମାଚାର ପ୍ରଚାରିତ ହେଲା, ଯେପରି ସେମାନେ ମନୁଷ୍ୟମାନଙ୍କ ସଦୃଶ ଶରୀରରେ ବିଚାରିତ ହେଲେ ହଁ ଈଶ୍ବରଙ୍କ ସଦୃଶ ଆତ୍ମାରେ ସଜୀବ ହେବେ। 7ମାତ୍ର ସମସ୍ତ ବିଷୟର ଅନ୍ତିମ ସମୟ ସନ୍ନିକଟ। ଅତଏବ ସୁବୁଦ୍ଧି ହୁଅ, ପୁଣି, ପ୍ରାର୍ଥନା କରିବା ପାଇଁ ଜାଗ୍ରତ ଥାଅ, 8ବିଶେଷରେ ପ୍ରଗାଢ଼ ପ୍ରେମରେ ପରସ୍ପରକୁ ପ୍ରେମ କରୁଥାଅ, କାରଣ ପ୍ରେମ ବହୁଳ ପାପ ଆଚ୍ଛାଦନ କରେ। 9କୁଣ୍ଠିତ ନ ହୋଇ ପରସ୍ପରର ଆତିଥ୍ୟ କର; 10ପ୍ରତ୍ୟେକ ଜଣ ଯେଉଁପରି ଅନୁଗ୍ରହ ଦାନ ପାଇଅଛ, ସେହି ପ୍ରକାରେ ଈଶ୍ବରଙ୍କ ବହୁବିଧ ଅନୁଗ୍ରହର ଉତ୍ତମ ଭଣ୍ଡାରଘରିଆ ସ୍ୱରୂପେ ତଦ୍ୱାରା ପରସ୍ପରର ସେବା କର; 11କେହି ଯଦି ପ୍ରଚାର କରେ, ତେବେ ସେ ଈଶ୍ବରଙ୍କ ବାକ୍ୟର ପ୍ରଚାରକ ପରି ପ୍ରଚାର କରୁ; କେହି ଯଦି ସେବା କରେ, ତେବେ ସେ ଈଶ୍ବରଙ୍କଠାରୁ ଶକ୍ତିପ୍ରାପ୍ତ ଲୋକ ପରି ସେବା କରୁ, ଯେପରି ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବର ଗୌରବାନ୍ୱିତ ହେବେ; ଯୁଗେ ଯୁଗେ ଗୌରବ ଓ ପରାକ୍ରମ ତାହାଙ୍କର। ଆମେନ୍‍।

ପ୍ରଭାତୀ ପ୍ରାର୍ଥନାର ଚତୁର୍ଥ ସୁସମାଚାର

ଲୂକ 24:1–12

1ଆଉ ବିଶ୍ରାମବାର ଦିନରେ ସେମାନେ ବିଧି ଅନୁସାରେ ବିଶ୍ରାମ କଲେ, କିନ୍ତୁ ସପ୍ତାହର ପ୍ରଥମ ଦିନର ଅତି ପ୍ରତ୍ୟୁଷରେ ସେମାନେ ସେମାନଙ୍କ ପ୍ରସ୍ତୁତ ସୁଗନ୍ଧିଦ୍ରବ୍ୟ ଘେନି ସମାଧି-ସ୍ଥାନ ନିକଟକୁ ଗଲେ। 2ପୁଣି, ସେମାନେ ସମାଧିରୁ ପଥରଟା ଗଡ଼ାଇ ଦିଆଯାଇଥିବା ଦେଖିଲେ, 3କିନ୍ତୁ ଭିତରକୁ ଯାଇ ପ୍ରଭୁ ଯୀଶୁଙ୍କ ଶରୀର ପାଇଲେ ନାହିଁ। 4ଆଉ, ସେମାନେ ସେ ସମ୍ବନ୍ଧରେ ହତବୁଦ୍ଧି ହେଉଅଛନ୍ତି, ଏପରି ସମୟରେ ଦେଖ, ଉଜ୍ଜ୍ୱଳବସ୍ତ୍ର ପରିହିତ ଦୁଇ ଜଣ ବ୍ୟକ୍ତି ସେମାନଙ୍କ ନିକଟରେ ଉପସ୍ଥିତ ହେଲେ; 5ସେଥିରେ ସେମାନେ ଭୀତ ହୋଇ ଅଧୋମୁଖ ହୁଅନ୍ତେ ସେମାନେ ସେମାନଙ୍କୁ କହିଲେ, ମୃତମାନଙ୍କ ମଧ୍ୟରେ ତୁମ୍ଭେମାନେ କାହିଁକି ଜୀବିତଙ୍କର ଅନ୍ୱେଷଣ କରୁଅଛ? 6ସେ ଏଠାରେ ନାହାନ୍ତି, ମାତ୍ର ଉଠିଅଛନ୍ତି। “ମନୁଷ୍ୟପୁତ୍ରଙ୍କୁ ଯେ ଅବଶ୍ୟ ପାପୀମାନଙ୍କ ହସ୍ତରେ ସମର୍ପିତ ହୋଇ କ୍ରୁଶରେ ହତ ହେବାକୁ ଓ ତୃତୀୟ ଦିବସରେ ପୁନରୁତ୍ଥାନ କରିବାକୁ ହେବ,” 7ଏହି ଯେଉଁ ବାକ୍ୟ ସେ ଗାଲିଲୀରେ ଥିବା ସମୟରେ ତୁମ୍ଭମାନଙ୍କୁ କହିଥିଲେ, ତାହା ସ୍ମରଣ କର। 8ସେଥିରେ ସେମାନେ ତାହାଙ୍କ ବାକ୍ୟ ସ୍ମରଣ କଲେ, 9ପୁଣି, ସମାଧିରୁ ବାହୁଡ଼ିଯାଇ ଏକାଦଶ ଶିଷ୍ୟମାନଙ୍କୁ ଓ ଅନ୍ୟ ସମସ୍ତଙ୍କୁ ଏହିସବୁ ସମ୍ବାଦ ଦେଲେ। 10ଏମାନେ ମଗ୍‌ଦଲୀନୀ ମରୀୟମ, ଯୋହାନା, ଯାକୁବଙ୍କ ମାତା ମରୀୟମ ଓ ଏମାନଙ୍କ ସାଙ୍ଗରେ ଥିବା ଅନ୍ୟ ସ୍ତ୍ରୀଲୋକମାନେ; ଏମାନେ ପ୍ରେରିତମାନଙ୍କୁ ଏହିସବୁ ବିଷୟ ଜଣାଇଲେ। 11ମାତ୍ର ଏସମସ୍ତ କଥା ସେମାନଙ୍କ ନିକଟରେ କଳ୍ପିତ ଗଳ୍ପ ପରି ଲାଗିଲା, ଆଉ ସେମାନେ ସେମାନଙ୍କୁ ବିଶ୍ୱାସ କଲେ ନାହିଁ। 12[କିନ୍ତୁ ପିତର ଉଠି ସମାଧି ନିକଟକୁ ଦୌଡ଼ିଗଲେ ପୁଣି, ନଇଁପଡ଼ି ଚାହିଁ କେବଳ ସୂକ୍ଷ୍ମ ବସ୍ତ୍ରସବୁ ଦେଖିଲେ, ଆଉ ସେ ସେହି ଘଟଣା ବିଷୟରେ ଚମତ୍କୃତ ହୋଇ ଆପଣା ଘରକୁ ଚାଲିଗଲେ।]

ପତ୍ର (ସନ୍ଥ ମାଥିଉଙ୍କ ପାଇଁ)

ପ୍ର.କରି 4:9–16

9କାରଣ ମୋହର ମନେ ହୁଏ, ଆମ୍ଭେମାନେ ଯେ ପ୍ରେରିତ, ଆମ୍ଭମାନଙ୍କୁ ଈଶ୍ବର ମୃତ୍ୟୁମୁଖରେ ସମର୍ପିତ ସର୍ବଶେଷର ଲୋକମାନଙ୍କ ସଦୃଶ ପ୍ରଦର୍ଶନ କରିଅଛନ୍ତି, ଯେଣୁ ଆମ୍ଭେମାନେ ଜଗତ, ଦୂତ ଓ ମନୁଷ୍ୟମାନଙ୍କ ନିକଟରେ କୌତୁକର ବିଷୟ ହୋଇଅଛୁ। 10ଆମ୍ଭେମାନେ ଖ୍ରୀଷ୍ଟଙ୍କ ନିମନ୍ତେ ମୂର୍ଖ, କିନ୍ତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ବୁଦ୍ଧିମାନ; ଆମ୍ଭେମାନେ ଦୁର୍ବଳ, କିନ୍ତୁ ତୁମ୍ଭେମାନେ ବଳବାନ; ତୁମ୍ଭେମାନେ ଗୌରବପ୍ରାପ୍ତ, କିନ୍ତୁ ଆମ୍ଭେମାନେ ଅନାଦୃତ। 11ଏ ସମୟ ପର୍ଯ୍ୟନ୍ତ ସୁଦ୍ଧା ଆମ୍ଭେମାନେ କ୍ଷୁଧିତ ଓ ତୃଷିତ, ବସ୍ତ୍ରହୀନ ଓ ପ୍ରହାରିତ ହେଉଅଛୁ, ପୁଣି, ନିରାଶ୍ରୟ ହୋଇ ଭ୍ରମଣ କରୁ କରୁ 12ସ୍ୱହସ୍ତରେ କର୍ମ କରି ପରିଶ୍ରମ କରୁଅଛୁ, ନିନ୍ଦିତ ହୋଇ ଆଶୀର୍ବାଦ କରୁଅଛୁ, ତାଡ଼ନା ପ୍ରାପ୍ତ ହୋଇ ସହ୍ୟ କରୁଅଛୁ, 13ଅପବାଦିତ ହୋଇ ମିଳନର କଥା କହୁଅଛୁ; ଏପର୍ଯ୍ୟନ୍ତ ସୁଦ୍ଧା ଆମ୍ଭେମାନେ ଜଗତର ଆବର୍ଜନା, ସମସ୍ତଙ୍କର କଳଙ୍କ ସ୍ୱରୂପ ହୋଇଅଛୁ। 14ମୁଁ ତୁମ୍ଭମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଏହି ସମସ୍ତ ବିଷୟ ଲେଖୁ ନାହିଁ, କିନ୍ତୁ ମୋହର ପ୍ରିୟ ସନ୍ତାନ ବୋଲି ମନେ କରି ତୁମ୍ଭମାନଙ୍କୁ ଚେତନା ଦେବା ନିମନ୍ତେ ଏହି ସମସ୍ତ ଲେଖୁଅଛି। 15କାରଣ ଯଦ୍ୟପି ଖ୍ରୀଷ୍ଟଙ୍କ ବିଷୟରେ ତୁମ୍ଭମାନଙ୍କର ଦଶ ସହସ୍ର ଶିକ୍ଷକ ଥାଆନ୍ତେ, ତଥାପି ତୁମ୍ଭମାନଙ୍କର ଅନେକ ପିତା ନାହାନ୍ତି; କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ମୁଁ ତୁମ୍ଭମାନଙ୍କୁ ସୁସମାଚାର ଦ୍ୱାରା ଜନ୍ମ ଦେଇଅଛି। 16ଏଣୁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରେ, ତୁମ୍ଭେମାନେ ମୋହର ଅନୁକାରୀ ହୁଅ।

ପତ୍ର

ଏଫି 5:8–19

8କାରଣ ତୁମ୍ଭେମାନେ ପୂର୍ବେ ଅନ୍ଧକାର ସ୍ୱରୂପ ଥିଲ, କିନ୍ତୁ ଏବେ ପ୍ରଭୁଙ୍କ ସହଭାଗିତାରେ ଆଲୋକ ସ୍ୱରୂପ ହୋଇଅଛ; ଆଲୋକର ସନ୍ତାନମାନଙ୍କ ପରି ଆଚରଣ କର, 9(କାରଣ ସମସ୍ତ ପ୍ରକାର ଉତ୍ତମତା, ଧାର୍ମିକତା ଓ ସତ୍ୟ ଆଲୋକର ଫଳ ସ୍ୱରୂପ), 10ପ୍ରଭୁଙ୍କର କଣ ସନ୍ତୋଷଜନକ, ତାହା ଅନୁସନ୍ଧାନ କର; 11ଅନ୍ଧକାରର ନିଷ୍ଫଳ କର୍ମସବୁର ସହଭାଗୀ ହୁଅ ନାହିଁ, ବରଂ ସେସବୁର ଦୋଷ ହିଁ ଦେଖାଇଦିଅ; 12କାରଣ ସେମାନେ ଯାହାସବୁ ଗୁପ୍ତରେ କରନ୍ତି, ସେହିସବୁ କଥା କହିବା ସୁଦ୍ଧା ଲଜ୍ଜାଜନକ, 13କିନ୍ତୁ ସମସ୍ତ ବିଷୟର ଦୋଷ ଆଲୋକ ଦ୍ୱାରା ଦେଖାଇ ଦିଆଯାଏ, ଯେଉଁ ସବୁ ପ୍ରକାଶିତ ହୁଏ, ତାହା ଆଲୋକ। 14ଏଣୁ ପବିତ୍ର ଶାସ୍ତ୍ରରେ ଉକ୍ତ ଅଛି, “ହେ ନିଦ୍ରିତ ଜାଗ, ମୃତମାନଙ୍କ ମଧ୍ୟରୁ ଉଠ, ପୁଣି, ଖ୍ରୀଷ୍ଟ ତୁମ୍ଭକୁ ଆଲୋକ ପ୍ରଦାନ କରିବେ।” 15ଅତଏବ ଅଜ୍ଞାନ ପରି ନ ହୋଇ ଜ୍ଞାନୀ ପରି ନିଜ ନିଜ ଆଚରଣ ସମ୍ବନ୍ଧରେ ବିଶେଷ ସାବଧାନ ହୁଅ, 16ପୁଣି, ସୁଯୋଗର ସତ୍ ବ୍ୟବହାର କର, କାରଣ କାଳ ମନ୍ଦ ଅଟେ। 17ଏଣୁ ନିର୍ବୋଧ ନ ହୋଇ ପ୍ରଭୁଙ୍କର କଣ ଇଚ୍ଛା ତାହା ବୁଝ। 18ଆଉ ଦ୍ରାକ୍ଷାରସରେ ମତ୍ତ ନ ହୁଅ, ସେଥିରୁ ତ ଅତ୍ୟାଚାର ଜନ୍ମେ, ମାତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା ପରସ୍ପରକୁ ଉତ୍ସାହ ଦିଅ, 19ପୁଣି, ତୁମ୍ଭମାନଙ୍କ ହୃଦୟରେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ଭଜନ ଓ ଗୀତ ଗାନ କର;

ସୁସମାଚାର (ସନ୍ଥ ମାଥିଉଙ୍କ ପାଇଁ)

ମାଥି 9:9–13

9ଯୀଶୁ ସେଠାରୁ ଯାଉ ଯାଉ ମାଥିଉ ନାମକ ଜଣେ ବ୍ୟକ୍ତିଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାହାଙ୍କୁ କହିଲେ, “ମୋହର ଅନୁଗମନ କର।” ସେଥିରେ ସେ ଉଠି ତାହାଙ୍କର ଅନୁଗମନ କଲେ। 10ଆଉ ଯୀଶୁ ଗୃହରେ ଭୋଜନ କରିବାକୁ ବସିବା ସମୟରେ, ଦେଖ, ଅନେକ କରଗ୍ରାହୀ ଏବଂ ପାପୀ ଆସି ତାହାଙ୍କ ଓ ତାହାଙ୍କର ଶିଷ୍ୟମାନଙ୍କ ସାଙ୍ଗରେ ବସିଲେ। 11ଫାରୂଶୀମାନେ ତାହା ଦେଖି ତାହାଙ୍କ ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ, “ତୁମ୍ଭମାନଙ୍କ ଗୁରୁ କାହିଁକି କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଭୋଜନ କରନ୍ତି?” 12କିନ୍ତୁ ଯୀଶୁ ତାହା ଶୁଣି କହିଲେ, “ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ଆବଶ୍ୟକ ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ଆବଶ୍ୟକ ଅଛି। 13କିନ୍ତୁ ‘ଆମ୍ଭେ ବଳିଦାନ ଭଲ ନ ପାଇ ଦୟା ଭଲ ପାଉ,’ ଏହି ବାକ୍ୟର ମର୍ମ ତୁମ୍ଭେମାନେ ଯାଇ ଶିକ୍ଷା କର, କାରଣ ମୁଁ ଧାର୍ମିକମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସି ନାହିଁ, ମାତ୍ର ପାପୀମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସିଅଛି।”

ସୁସମାଚାର

ଲୂକ 10:25–37

25ଆଉ ଦେଖ, ଜଣେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ଉଠି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ହେ ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କଅଣ କରିବି? 26ସେଥିରେ ଯୀଶୁ ତାହାଙ୍କୁ କହିଲେ, “ମୋଶାଙ୍କ ବ୍ୟବସ୍ଥାରେ କଅଣ ଲେଖାଅଛି? ତୁମ୍ଭେ କିପରି ପାଠ କରୁଅଛ?” 27ସେ ଉତ୍ତର ଦେଲେ, ତୁମ୍ଭେ ଆପଣାର ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ସମସ୍ତ ଶକ୍ତି ଓ ସମସ୍ତ ମନ ଦେଇ ପ୍ରଭୁ ଆପଣା ଈଶ୍ବରଙ୍କୁ ପ୍ରେମ କର; ପୁଣି, ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର। 28ସେଥିରେ ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭେ ଠିକ୍ ଉତ୍ତର ଦେଲ; ଏହା କର, ତାହାହେଲେ ତୁମ୍ଭେ ଜୀବନ ପାଇବ।” 29କିନ୍ତୁ ସେ ଆପଣାକୁ ଧାର୍ମିକ ବୋଲି ଦେଖାଇବାକୁ ଇଚ୍ଛା କରି ଯୀଶୁଙ୍କୁ ପଚାରିଲେ, ତେବେ ମୋହର ପ୍ରତିବାସୀ କିଏ? 30ଯୀଶୁ ସେହି ପ୍ରସଙ୍ଗ ଧରି କହିଲେ, “ଜଣେ ଲୋକ ଯିରୂଶାଲମ ସହରରୁ ଯିରୀହୋକୁ ଯାଉ ଯାଉ ଡକାଇତମାନଙ୍କ ହାବୁଡ଼ରେ ପଡ଼ିଲା। ସେମାନେ ତାହାର ଲୁଗାପଟା ଛଡ଼ାଇନେଇ ଓ ମାଡ଼ ମାରି ତାହାକୁ ଦରମରା ଅବସ୍ଥାରେ ଛାଡ଼ି ଚାଲିଗଲେ। 31ଘଟଣା ପରେ-ପରେ ଜଣେ ଯାଜକ ସେହି ବାଟ ଦେଇ ଯାଉଥିଲେ, ଆଉ ସେ ତାହାକୁ ଦେଖି ବାଟର ଆରପାଖ ଦେଇ ଗଲେ। 32ସେହି ପ୍ରକାରେ ଜଣେ ଲେବୀୟ ମଧ୍ୟ ସେ ସ୍ଥାନକୁ ଆସି ତାହାକୁ ଦେଖି ବାଟର ଆରପାଖ ଦେଇ ଚାଲିଗଲେ। 33କିନ୍ତୁ ଜଣେ ଶମିରୋଣୀୟ ପଥିକ ତାହା ନିକଟକୁ ଆସି ତାହାକୁ ଦେଖି ଦୟାରେ ବିଗଳିତ ହେଲେ, 34ଏବଂ ପାଖକୁ ଯାଇ ତାହାର କ୍ଷତ ସବୁରେ ତୈଳ ଓ ଦ୍ରାକ୍ଷାରସ ଢ଼ାଳି ସେହିସବୁ ବାନ୍ଧିଦେଲେ, ଆଉ ତାହାକୁ ନିଜ ଗଧ ଉପରେ ବସାଇ ତାହାକୁ ଗୋଟିଏ ପାନ୍ଥଶାଳାକୁ ନେଇଯାଇ ତାହାର ସେବା କଲେ। 35ତହିଁ ଆରଦିନ ସେ ଦୁଇଟି ରୌପ୍ୟ-ମୁଦ୍ରା ବାହାର କରି ପାନ୍ଥଶାଳାର ମାଲିକଙ୍କୁ ଦେଇ କହିଲେ, ‘ଏହାର ସେବା କର, ଆଉ ଯାହା କିଛି ଅଧିକ ଖର୍ଚ୍ଚ କରିବ, ତାହା ମୁଁ ଫେରିଆସିବା ସମୟରେ ତୁମ୍ଭକୁ ପରିଶୋଧ କରିବି।’” 36“ଏହି ତିନି ଜଣଙ୍କ ମଧ୍ୟରୁ କିଏ ଡକାଇତମାନଙ୍କ ହାବୁଡ଼ରେ ପଡ଼ିଥିବା ଲୋକଟିର ପ୍ରତିବାସୀ ବୋଲି ମନେ କରୁଅଛ?” 37ସେ କହିଲେ, ଯେ ତାହା ପ୍ରତି ଦୟା କଲା, ସେ। ଯୀଶୁ ତାହାଙ୍କୁ କହିଲେ, “ଯାଅ, ତୁମ୍ଭେ ମଧ୍ୟ ସେହି ପ୍ରକାର କର।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ନଭେମ୍ବର 16 ନାଗରିକ ପଞ୍ଜିକାର ନଭେମ୍ବର 29। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର