ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2026 › ଡିସେମ୍ବର 19
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 19 ଡିସେମ୍ବର 2026
ଶନିବାର · ଆଗମନ କାଳର ତୃତୀୟ ସପ୍ତାହ
ପର୍ବ ଓ ସନ୍ଥ
19 ଡିସେମ୍ବର
ସାଧାରଣ ଦିନ · ଉପାସନାର ରଙ୍ଗ: ବାଇଗଣୀ
ଦିନର ପାଠ
ପ୍ରଥମ ପାଠ
2ସେହି ସମୟରେ ଦାନୀୟ ଗୋଷ୍ଠୀ ମଧ୍ୟରେ ସରାୟ ନିବାସୀ ଏକ ମନୁଷ୍ୟ ଥିଲା, ତାହାର ନାମ ମାନୋହ; ତାହାର ଭାର୍ଯ୍ୟା ବନ୍ଧ୍ୟା ଓ ପ୍ରସବ କରି ନ ଥିଲା। 3ପୁଣି ସଦାପ୍ରଭୁଙ୍କ ଦୂତ ସେହି ସ୍ତ୍ରୀକୁ ଦର୍ଶନ ଦେଇ ତାହାକୁ କହିଲେ, “ଦେଖ, ତୁମ୍ଭେ ବନ୍ଧ୍ୟା ଓ ପ୍ରସବ କରି ନାହଁ; ମାତ୍ର ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ। 4ଏହେତୁ ଏବେ ଏହା କର ଓ ତୁମ୍ଭେ ସାବଧାନ ହୁଅ, ଦ୍ରାକ୍ଷାରସ କି ମଦ୍ୟ ପାନ କର ନାହିଁ ଓ କୌଣସି ଅଶୁଚି ଦ୍ରବ୍ୟ ଭୋଜନ କର ନାହିଁ; 5କାରଣ ଦେଖ, ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ, ଆଉ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ; ଯେହେତୁ ସେ ବାଳକ ଗର୍ଭାବଧି ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନାସରୀୟ ହେବ ଓ ସେ ପଲେଷ୍ଟୀୟମାନଙ୍କ ହସ୍ତରୁ ଇସ୍ରାଏଲକୁ ଉଦ୍ଧାର କରିବାକୁ ଆରମ୍ଭ କରିବ।” 6ଏଉତ୍ତାରେ ସେହି ସ୍ତ୍ରୀ ଆସି ଆପଣା ସ୍ୱାମୀକୁ କହିଲା, “ପରମେଶ୍ୱରଙ୍କର ଏକ ଲୋକ ମୋʼ ନିକଟକୁ ଆସିଲେ। ତାହାଙ୍କ ରୂପ ପରମେଶ୍ୱରଙ୍କ ଦୂତଙ୍କ ରୂପ ତୁଲ୍ୟ ଅତି ଭୟଙ୍କର; ମାତ୍ର ସେ କେଉଁଠାରୁ ଆସିଲେ, ଏହା ମୁଁ ତାହାଙ୍କୁ ପଚାରିଲି ନାହିଁ, କିଅବା ସେ ଆପଣା ନାମ ମୋତେ କହିଲେ ନାହିଁ; 7ମାତ୍ର ସେ ମୋତେ କହିଲେ, ‘ଦେଖ, ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ; ଏହେତୁ ଦ୍ରାକ୍ଷାରସ କି ମଦ୍ୟ ପାନ କର ନାହିଁ ଓ କୌଣସି ଅଶୁଚି ଦ୍ରବ୍ୟ ଭୋଜନ କର ନାହିଁ; କାରଣ ସେହି ବାଳକ ଗର୍ଭାବଧି ମରଣ ଦିନ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନାସରୀୟ ହେବ,’” 24ଏଥିଉତ୍ତାରେ ସେହି ସ୍ତ୍ରୀ ପୁତ୍ର ପ୍ରସବ କରି ତାହାର ନାମ ଶାମ୍ଶୋନ୍ ଦେଲା। ତହୁଁ ସେହି ବାଳକ ବଢ଼ିଲା ଓ ସଦାପ୍ରଭୁ ତାହାକୁ ଆଶୀର୍ବାଦ କଲେ। 25ପୁଣି ସଦାପ୍ରଭୁଙ୍କ ଆତ୍ମା ସରାୟ ଓ ଇଷ୍ଟାୟୋଲ ମଧ୍ୟବର୍ତ୍ତୀ ମହନୀ-ଦାନରେ ତାହାକୁ ଚଳାଇବାକୁ ଲାଗିଲେ।
ପ୍ରତିଉତ୍ତର ଗୀତ
3ଯେଉଁଠାକୁ ମୁଁ ନିତ୍ୟ ଯାଇପାରେ, ତୁମ୍ଭେ ମୋʼ ପ୍ରତି ସେରୂପ ବସତିର ଶୈଳ ସ୍ୱରୂପ ହୁଅ; ତୁମ୍ଭେ ମୋତେ ପରିତ୍ରାଣ କରିବା ପାଇଁ ଆଜ୍ଞା ଦେଇଅଛ; କାରଣ ତୁମ୍ଭେ ମୋହର ଶୈଳ ଓ ମୋହର ଦୁର୍ଗ। 4ହେ ମୋହର ପରମେଶ୍ୱର, ଦୁଷ୍ଟ ଲୋକ ହସ୍ତରୁ, ଅନ୍ୟାୟକାରୀ ଓ ନିର୍ଦ୍ଦୟ ଲୋକ ହସ୍ତରୁ ମୋତେ ରକ୍ଷା କର। 5କାରଣ ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ହିଁ ମୋହର ଭରସା; ମୋʼ ବାଲ୍ୟକାଳରୁ ତୁମ୍ଭେ ମୋହର ବିଶ୍ୱାସଭୂମି। 6ଗର୍ଭରୁ ତୁମ୍ଭ ଉପରେ ମୋହର ଭାର ଅଛି; ମାତାର ଉଦରରୁ ତୁମ୍ଭେ ହିଁ ମୋତେ ନେଇଅଛ; ତୁମ୍ଭ ବିଷୟରେ ନିତ୍ୟ ମୋହର ପ୍ରଶଂସା ହେବ। 16ମୁଁ ପ୍ରଭୁ, ସଦାପ୍ରଭୁଙ୍କ ପରାକ୍ରମର ସକଳ କ୍ରିୟା ସହିତ ଉପସ୍ଥିତ ହେବି। ମୁଁ ତୁମ୍ଭର, କେବଳ ତୁମ୍ଭର ଧର୍ମ ବିଷୟ ବର୍ଣ୍ଣନା କରିବି। 17ହେ ପରମେଶ୍ୱର, ତୁମ୍ଭେ ମୋତେ ବାଲ୍ୟକାଳଠାରୁ ଶିକ୍ଷା ଦେଇ ଆସୁଅଛ; ପୁଣି, ମୁଁ ଏପର୍ଯ୍ୟନ୍ତ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସବୁ ପ୍ରଚାର କରିଅଛି।
ସୁସମାଚାର
5ଯିହୂଦିୟା ପ୍ରଦେଶର ରାଜା ହେରୋଦଙ୍କ ସମୟରେ ଅବିୟଙ୍କ ଦଳର ଜିଖରୀୟ ନାମରେ ଜଣେ ଯାଜକ ଥିଲେ; ତାହାଙ୍କ ଭାର୍ଯ୍ୟା ହାରୋଣ ବଂଶର କନ୍ୟା, ତାହାଙ୍କର ନାମ ଏଲୀଶାବେଥ। 6ସେମାନେ ଉଭୟେ ପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ନିୟମ ଅନୁସାରେ ନିର୍ଦ୍ଦୋଷ ରୂପେ ଆଚରଣ କରି ଈଶ୍ବରଙ୍କ ଦୃଷ୍ଟିରେ ଧାର୍ମିକ ଥିଲେ। 7କିନ୍ତୁ ସେମାନଙ୍କର ସନ୍ତାନ ନ ଥିଲା, କାରଣ ଏଲୀଶାବେଥ ବନ୍ଧ୍ୟା ଥିଲେ, ପୁଣି, ଉଭୟଙ୍କ ବୟସ ଅଧିକ ହୋଇଯାଇଥିଲା। 8ସେ ଆପଣା ଦଳର ପାଳି ଅନୁସାରେ ଈଶ୍ବରଙ୍କ ନିକଟରେ ଯାଜକ କାର୍ଯ୍ୟ କରୁଥିବା ସମୟରେ, 9ଯାଜକୀୟ କାର୍ଯ୍ୟର ରୀତି ଅନୁଯାୟୀ ଗୁଲିବାଣ୍ଟ ଦ୍ୱାରା ତାହାଙ୍କୁ ପ୍ରଭୁଙ୍କ ମନ୍ଦିରରେ ପ୍ରବେଶ କରି ଧୂପ ଦେବାକୁ ପଡ଼ିଲା, 10ଆଉ ଧୂପ ଦେବା ସମୟରେ ସମସ୍ତ ଜନତା ବାହାରେ ପ୍ରାର୍ଥନା କରୁଥିଲେ। 11ସେତେବେଳେ ପ୍ରଭୁଙ୍କର ଜଣେ ଦୂତ ଧୂପବେଦିର ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇ ତାହାଙ୍କୁ ଦର୍ଶନ ଦେଲେ। 12ଜିଖରୀୟ ତାହାଙ୍କୁ ଦେଖି ବିଚଳିତ ଓ ଭୟଗ୍ରସ୍ତ ହେଲେ। 13କିନ୍ତୁ ଦୂତ ତାହାଙ୍କୁ କହିଲେ, ଜିଖରୀୟ, ଭୟ କର ନାହିଁ, କାରଣ ତୁମ୍ଭର ନିବେଦନ ଶୁଣାଯାଇଅଛି, ଆଉ ତୁମ୍ଭର ଭାର୍ଯ୍ୟା ଏଲୀଶାବେଥ ତୁମ୍ଭ ନିମନ୍ତେ ଗୋଟିଏ ପୁତ୍ର ପ୍ରସବ କରିବେ, ପୁଣି, ତୁମ୍ଭେ ତାହାର ନାମ ଯୋହନ ଦେବ। 14ସେ ତୁମ୍ଭର ଆନନ୍ଦ ଓ ଉଲ୍ଲାସର କାରଣ ହେବ, ପୁଣି, ଅନେକେ ତାହାର ଜନ୍ମରେ ଆନନ୍ଦ କରିବେ। 15ଯେଣୁ ସେ ପ୍ରଭୁଙ୍କ ଛାମୁରେ ମହାନ ହେବ; ସେ ଦ୍ରାକ୍ଷାରସ କି ମଦ୍ୟ କେବେ ହେଁ ପାନ କରିବ ନାହିଁ, ପୁଣି, ମାତାର ଉଦରରୁ ହିଁ ପବିତ୍ର ଆତ୍ମାରେ ପୂର୍ଣ୍ଣ ହେବ, 16ଆଉ ସେ, ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରୁ ଅନେକଙ୍କୁ ପ୍ରଭୁ ସେମାନଙ୍କ ଈଶ୍ବରଙ୍କ ପ୍ରତି ଫେରାଇବ। 17ପିତାମାନଙ୍କ ହୃଦୟ ସନ୍ତାନମାନଙ୍କ ପ୍ରତି ଓ ଅବାଧ୍ୟମାନଙ୍କୁ ଧାର୍ମିକମାନଙ୍କ ଜ୍ଞାନରେ ଆଚରଣ କରିବା ନିମନ୍ତେ ଫେରାଇବାକୁ ଏବଂ ପ୍ରଭୁଙ୍କ ସକାଶେ ସୁସଜ୍ଜିତ ଗୋଟିଏ ପ୍ରଜାମଣ୍ଡଳୀ ପ୍ରସ୍ତୁତ କରିବାକୁ ସେ ଏଲୀୟଙ୍କ ଆତ୍ମା ଓ ଶକ୍ତିରେ ପ୍ରଭୁଙ୍କ ଆଗରେ ଗମନ କରିବ। 18ଏଥିରେ ଜିଖରୀୟ ଦୂତଙ୍କୁ କହିଲେ, ମୁଁ କେଉଁ ଚିହ୍ନ ଦ୍ୱାରା ଏହା ଜାଣିବି? କାରଣ ମୁଁ ତ ବୃଦ୍ଧ, ପୁଣି, ମୋହର ଭାର୍ଯ୍ୟାଙ୍କ ବୟସ ଅଧିକ ହେଲାଣି। 19ଦୂତ ତାହାଙ୍କୁ ଉତ୍ତର ଦେଲେ, ମୁଁ ଗାବ୍ରିଏଲ, ମୁଁ ଈଶ୍ବରଙ୍କ ଉପସ୍ଥିତିରେ ଠିଆ ହୁଏ, ଆଉ ତୁମ୍ଭକୁ କହିବାକୁ ଓ ଏହି ସୁସମାଚାର ଜଣାଇବାକୁ ମୁଁ ପଠାଯାଇଅଛି। 20ଦେଖ, ଏହି ସମସ୍ତ ନ ଘଟିବା ଦିନ ପର୍ଯ୍ୟନ୍ତ ତୁମ୍ଭେ ନୀରବ ରହି କଥା କହି ପାରିବ ନାହିଁ, କାରଣ ମୋହର ଯେଉଁ ସବୁ ବାକ୍ୟ ଯଥା ସମୟରେ ସଫଳ ହେବ, ସେହିସବୁ ତୁମ୍ଭେ ବିଶ୍ୱାସ କଲ ନାହିଁ। 21ଇତିମଧ୍ୟରେ ଲୋକମାନେ ଜିଖରୀୟଙ୍କ ଅପେକ୍ଷାରେ ଥିଲେ, ଆଉ ମନ୍ଦିରରେ ତାଙ୍କର ବିଳମ୍ବ ଘଟିବାରେ ସେମାନେ ଆଶ୍ଚର୍ଯ୍ୟ ହେଉଥିଲେ। 22କିନ୍ତୁ ସେ ବାହାରି ଆସି ସେମାନଙ୍କୁ କଥା କହି ପାରିଲେ ନାହିଁ; ଏଥିରେ ସେ ମନ୍ଦିରରେ ଦର୍ଶନ ପାଇଅଛନ୍ତି ବୋଲି ସେମାନେ ବୁଝିଲେ, ଆଉ ସେ ସେମାନଙ୍କୁ ସଙ୍କେତ କରିବାକୁ ଲାଗିଲେ ଓ ମୂକ ହୋଇ ରହିଲେ। 23ପରେ ତାହାଙ୍କ ସେବାପାଳିର ଦିନସବୁ ଶେଷ ହୁଅନ୍ତେ, ସେ ଆପଣା ଘରକୁ ଗଲେ। 24ଏଥିଉତ୍ତାରେ ତାହାଙ୍କ ଭାର୍ଯ୍ୟା ଏଲୀଶାବେଥ ଗର୍ଭବତୀ ହେଲେ, ଆଉ ସେ ପାଞ୍ଚ ମାସ ଗୋପନରେ ରହି କହିଲେ, 25ଲୋକମାନଙ୍କ ମଧ୍ୟରେ ମୋହର ଅପମାନ ଦୂର କରିବା ନିମନ୍ତେ ପ୍ରଭୁ କୃପାଦୃଷ୍ଟି କରି ମୋʼ ପ୍ରତି ଏପରି କରିଅଛନ୍ତି।
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର