Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2026 › ଡିସେମ୍ବର 19

ଅର୍ଥୋଡକ୍ସ ପଞ୍ଜିକା · 6 ଡିସେମ୍ବର (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 19 ଡିସେମ୍ବର 2026

ଶନିବାର · ପେଣ୍ଟିକଷ୍ଟ ପରେ 29ତମ ସପ୍ତାହ · ସ୍ୱର 3

ପର୍ବ ଓ ସନ୍ଥ

Saint Nicholas the Wonderworker, Archbishop of Myra in Lycia († c. 345)

ଜନ୍ମ ପର୍ବର ଉପବାସ

ମାଛ ଚଳିବ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ସନ୍ଧ୍ୟା ପ୍ରାର୍ଥନା: ପାଠ

ହିତୋ 10; ହିତୋ 3; ହିତୋ 8 (ବଛାଯାଇଥିବା ପଦ)

ସନ୍ଧ୍ୟା ପ୍ରାର୍ଥନା: ପାଠ

ହିତୋ 10:31–11:12

31ଧାର୍ମିକର ମୁଖ ଜ୍ଞାନ ଜନ୍ମାଏ, ମାତ୍ର କୁଟିଳବାଦୀ ଜିହ୍ୱା ଉଚ୍ଛିନ୍ନ ହେବ। 32ଧାର୍ମିକର ଓଷ୍ଠାଧର ତୁଷ୍ଟିକର କଥା ଜାଣେ, ମାତ୍ର ଦୁଷ୍ଟର ମୁଖ କୁଟିଳ କଥା କହେ। 11:1ଅଯଥାର୍ଥ ନିକ୍ତି ସଦାପ୍ରଭୁଙ୍କର ଘୃଣା ବିଷୟ। ମାତ୍ର ଯଥାର୍ଥ ବଟଖରା ତାହାଙ୍କର ତୁଷ୍ଟିକର। 2ଅହଙ୍କାର ଆସିଲେ ଲଜ୍ଜା ଆସେ; ମାତ୍ର ନମ୍ରଶୀଳ ଲୋକଠାରେ ଜ୍ଞାନ ଥାଏ। 3ସରଳାଚାରୀମାନଙ୍କ ସରଳତା ସେମାନଙ୍କୁ ପଥ ଦେଖାଇବ, ମାତ୍ର ବିଶ୍ୱାସଘାତକମାନଙ୍କ କୁଟିଳାଚରଣ ସେମାନଙ୍କୁ ନାଶ କରିବ। 4ପରମେଶ୍ୱରଙ୍କ କ୍ରୋଧର ଦିନରେ ଧନ ନିଷ୍ଫଳ, ମାତ୍ର ଧାର୍ମିକତା ମୃତ୍ୟୁରୁ ରକ୍ଷା କରେ। 5ସାଧୁର ଧାର୍ମିକତା ତାହାର ପଥ ନିର୍ଦ୍ଦେଶ କରିବ, ମାତ୍ର ଦୁଷ୍ଟ ଆପଣା ଦୁଷ୍ଟତାରେ ନିପାତିତ ହେବ। 6ସରଳ ଲୋକଙ୍କର ଧାର୍ମିକତା ସେମାନଙ୍କୁ ଉଦ୍ଧାର କରେ, ମାତ୍ର ବିଶ୍ୱାସଘାତକମାନେ ଆପଣା ଆପଣା କୁଅଭିଳାଷରେ ଧରା ପଡ଼ିବେ। 7ଦୁଷ୍ଟ ମଲେ, ତାହାର ଭରସା ନଷ୍ଟ ହୁଏ ଓ ଅଧାର୍ମିକମାନଙ୍କର ଆଶା ବିନଷ୍ଟ ହୁଏ। 8ଧାର୍ମିକ ଦୁଃଖରୁ ଉଦ୍ଧାର ପାଏ, ପୁଣି, ଦୁଷ୍ଟ ତାହା ବଦଳେ ତହିଁକୁ ଆସେ। 9ଭକ୍ତିହୀନ ଲୋକ ଆପଣା ମୁଖରେ ପ୍ରତିବାସୀକୁ ନାଶ କରେ, ମାତ୍ର ଧାର୍ମିକ ଜ୍ଞାନରେ ଉଦ୍ଧାର ପ୍ରାପ୍ତ ହୁଏ। 10ଧାର୍ମିକର ମଙ୍ଗଳ ହେଲେ, ନଗର ଆନନ୍ଦ କରେ; ପୁଣି, ଦୁଷ୍ଟର ବିନାଶ ହେଲେ, ଜୟଧ୍ୱନି ହୁଏ। 11ସରଳ ଲୋକର ଆଶୀର୍ବାଦରେ ନଗର ଉନ୍ନତ ହୁଏ, ମାତ୍ର ଦୁଷ୍ଟ ଲୋକର ମୁଖରେ ତାହାର ନିପାତ ହୁଏ। 12ଯେ ଆପଣା ପ୍ରତିବାସୀକୁ ତୁଚ୍ଛ କରେ, ସେ ନିର୍ବୋଧ; ମାତ୍ର ବୁଦ୍ଧିମାନ ତୁନି ହୋଇ ରହେ।

ସନ୍ଧ୍ୟା ପ୍ରାର୍ଥନା: ପାଠ

ଏହି ଅନୁବାଦରେ ନାହିଁ

ପ୍ରଭାତୀ ପ୍ରାର୍ଥନା: ସୁସମାଚାର

ଯୋହ 10:9–16

9ମୁଁ ଦ୍ୱାର, ଯଦି କେହି ମୋʼ ଦେଇ ପ୍ରବେଶ କରେ, ତାହାହେଲେ ସେ ରକ୍ଷା ପାଇବ ଏବଂ ଭିତରକୁ ଆସି ଓ ବାହାରକୁ ଯାଇ ଚରା ପାଇବ। 10ଚୋର କେବଳ ଚୋରି, ବଧ ଓ ବିନାଶ କରିବା ନିମନ୍ତେ ଆସେ; ସେମାନେ ଯେପରି ଜୀବନ ପାଆନ୍ତି ଓ ପ୍ରଚୁର ଭାବରେ ପାଆନ୍ତି, ଏଥିନିମନ୍ତେ ମୁଁ ଆସିଅଛି। 11ମୁଁ ଉତ୍ତମ ମେଷପାଳକ; ଉତ୍ତମ ମେଷପାଳକ ମେଷଗୁଡ଼ିକ ନିମନ୍ତେ ଆପଣା ପ୍ରାଣ ଦିଏ। 12ଯେ ମେଷପାଳକ ନୁହେଁ, ମାତ୍ର ମୂଲିଆ, ମେଷଗୁଡ଼ିକ ଯାହାର ନିଜର ନୁହଁନ୍ତି, ସେ ବାଘ ଆସିବା ଦେଖି ମେଷଗୁଡ଼ିକୁ ଛାଡ଼ି ପଳାଏ (ଆଉ ବାଘ ସେମାନଙ୍କୁ ଧରି ଛିନ୍ନଭିନ୍ନ କରେ), 13କାରଣ ସେ ମୂଲିଆ ଓ ମେଷଗୁଡ଼ିକ ନିମନ୍ତେ ଚିନ୍ତା କରେ ନାହିଁ। 14ମୁଁ ଉତ୍ତମ ମେଷପାଳକ। ପିତା ଯେପରି ମୋତେ ଜାଣନ୍ତି ଓ ମୁଁ ପିତାଙ୍କୁ ଜାଣେ, 15ସେହିପରି ମୁଁ ମୋʼ ନିଜର ମେଷଗୁଡ଼ିକୁ ଜାଣେ, ଆଉ ମୋʼ ନିଜର ମେଷଗୁଡ଼ିକ ମୋତେ ଜାଣନ୍ତି, ପୁଣି, ମେଷଗୁଡ଼ିକ ନିମନ୍ତେ ମୁଁ ମୋହର ପ୍ରାଣ ଦିଏ। 16ଯେଉଁ ମେଷଗୁଡ଼ିକ ଏହି ମେଷଶାଳାର ନୁହଁନ୍ତି, ମୋହର ଏପରି ଅନ୍ୟ ମେଷଗୁଡ଼ିକ ଅଛନ୍ତି, ସେମାନଙ୍କୁ ମଧ୍ୟ ମୋତେ ଆଣିବାକୁ ହେବ, ପୁଣି, ସେମାନେ ମୋହର ସ୍ୱର ଶୁଣିବେ; ସେଥିରେ ଗୋଟିଏ ପଲ ଓ ଗୋଟିଏ ପାଳକ ହେବେ।

ପତ୍ର (ସନ୍ଥ ନିକୋଲାସ୍‌ଙ୍କ ପାଇଁ)

ଏବ୍ରୀ 13:17–21

17ତୁମ୍ଭମାନଙ୍କ ନେତାମାନଙ୍କର ବାଧ୍ୟ ହୋଇ ସେମାନଙ୍କର ବଶୀଭୂତ ହୁଅ, କାରଣ ଯେଉଁମାନଙ୍କୁ ନିକାଶ ଦେବାକୁ ହେବ, ସେମାନଙ୍କ ସଦୃଶ ସେମାନେ ତୁମ୍ଭମାନଙ୍କ ଆତ୍ମା ସମ୍ବନ୍ଧରେ ପ୍ରହରୀକର୍ମ କରନ୍ତି, ଯେପରି ସେମାନେ ତାହା ଦୁଃଖରେ ନ କରି ଆନନ୍ଦରେ କରିପାରନ୍ତି; ଦୁଃଖରେ କଲେ, ତୁମ୍ଭମାନଙ୍କର କିଛି ଲାଭ ନାହିଁ। 18ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର, କାରଣ ଆମ୍ଭମାନଙ୍କର ବିଶ୍ୱାସ ଯେ, ଆମ୍ଭମାନଙ୍କର ସୁବିବେକ ଅଛି, ଯେଣୁ ସମସ୍ତ ବିଷୟରେ ସଦାଚରଣ କରିବାକୁ ଆମ୍ଭେମାନେ ଇଚ୍ଛା କରୁଅଛୁ। 19ଆଉ ମୁଁ ଯେପରି ଶୀଘ୍ର ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇପାରିବି, ଏଥିନିମନ୍ତେ ପ୍ରାର୍ଥନା କରିବାକୁ ତୁମ୍ଭମାନଙ୍କୁ ବିଶେଷ ଭାବରେ ଅନୁରୋଧ କରୁଅଛି। 20ଯେଉଁ ଶାନ୍ତିଦାତା ଈଶ୍ବର ଅନନ୍ତକାଳସ୍ଥାୟୀ ନିୟମର ରକ୍ତ ହେତୁ ପ୍ରଧାନ ମେଷପାଳକ, ଅର୍ଥାତ୍‍, ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଫେରାଇ ଆଣିଲେ; 21ତାହାଙ୍କ ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା ସେ ଆମ୍ଭମାନଙ୍କ ଅନ୍ତରରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ସମ୍ପନ୍ନ କରି ତାହାଙ୍କ ଇଚ୍ଛା ସାଧନ କରିବାକୁ ତୁମ୍ଭମାନଙ୍କୁ ପ୍ରତ୍ୟେକ ସତ୍କର୍ମରେ ସିଦ୍ଧ କରନ୍ତୁ। ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍‍।

ସୁସମାଚାର (ସନ୍ଥ ନିକୋଲାସ୍‌ଙ୍କ ପାଇଁ)

ଲୂକ 6:17–23

17ଆଉ ସେ ସେମାନଙ୍କ ସହିତ ଓହ୍ଲାଇ ଗୋଟିଏ ସମତଳ ଭୂମିରେ ଠିଆ ହେଲେ, ପୁଣି, ତାହାଙ୍କର ଅନେକ ଶିଷ୍ୟ ଏବଂ ସମସ୍ତ ଯିହୂଦିୟା ପ୍ରଦେଶ, ଯିରୂଶାଲମ ଆଉ ସୋର ଓ ସୀଦୋନର ଉପକୂଳରୁ ଅନେକେ ଉପସ୍ଥିତ ହେଲେ; 18ସେମାନେ ତାହାଙ୍କ ବାକ୍ୟ ଶୁଣିବାକୁ ଓ ଆପଣା ଆପଣା ରୋଗରୁ ସୁସ୍ଥ ହେବାକୁ ଆସିଥିଲେ, ଆଉ ଯେଉଁମାନେ ଅଶୁଚି ଆତ୍ମାଗୁଡ଼ାକ ଦ୍ୱାରା କଷ୍ଟ ପାଉଥିଲେ, ସେମାନେ ସୁସ୍ଥ କରାଗଲେ; 19ପୁଣି, ଲୋକସମୂହ ତାହାଙ୍କୁ ଛୁଇଁବାକୁ ଚେଷ୍ଟା କରୁଥିଲେ, କାରଣ ତାହାଙ୍କଠାରୁ ଶକ୍ତି ବାହାରି ସମସ୍ତଙ୍କୁ ସୁସ୍ଥ କରୁଥିଲା। 20ସେ ସମୟରେ ସେ ଆପଣା ଶିଷ୍ୟମାନଙ୍କୁ ଦେଖି କହିଲେ, “ଦୀନହୀନ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କର। 21ବର୍ତ୍ତମାନ କ୍ଷୁଧିତ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ତୁମ୍ଭେମାନେ ପରିତୃପ୍ତ ହେବ। ବର୍ତ୍ତମାନ ରୋଦନ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ତୁମ୍ଭେମାନେ ହାସ୍ୟ କରିବ। 22ଲୋକେ ଯେବେ ତୁମ୍ଭମାନଙ୍କୁ ଘୃଣା କରନ୍ତି ଓ ମନୁଷ୍ୟପୁତ୍ରଙ୍କ ହେତୁ ଅଲଗା କରନ୍ତି ପୁଣି, ନିନ୍ଦା କରନ୍ତି ଓ ତୁମ୍ଭମାନଙ୍କ ନାମକୁ ମନ୍ଦ ବୋଲି ଅଗ୍ରାହ୍ୟ କରନ୍ତି, ତେବେ ତୁମ୍ଭେମାନେ ଧନ୍ୟ। 23ସେହି ଦିନ ଆନନ୍ଦରେ ନୃତ୍ୟ କର, କାରଣ ଦେଖ, ସ୍ୱର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ଆଉ ସେହିପରି ତ ସେମାନଙ୍କ ପିତୃ-ପୁରୁଷମାନେ ଭାବବାଦୀମାନଙ୍କ ପ୍ରତି କରୁଥିଲେ।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଡିସେମ୍ବର 6 ନାଗରିକ ପଞ୍ଜିକାର ଡିସେମ୍ବର 19। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର