Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜାନୁଆରୀ 2027 › ଜାନୁଆରୀ 10

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 10 ଜାନୁଆରୀ 2027

ରବିବାର · ବଡ଼ଦିନ କାଳ

ପର୍ବ ଓ ସନ୍ଥ

ପ୍ରଭୁଙ୍କ ବାପ୍ତିସ୍ମ

ପର୍ବ · ଉପାସନାର ରଙ୍ଗ: ଧଳା

ଦିନର ପାଠ

ପ୍ରଥମ ପାଠ

ଯିଶା 55:1–11

1“ହେ ତୃଷିତ ଲୋକସକଳ, ତୁମ୍ଭେମାନେ ଜଳ ନିକଟକୁ ଆସ, ପୁଣି ଯାହାର କିଛି ଅର୍ଥ ନାହିଁ, ସେ ଆସୁ; ତୁମ୍ଭେମାନେ ଆସ, କିଣ ଓ ଭୋଜନ କର; ହଁ, ଆସ, ଅର୍ଥ ଓ ମୂଲ୍ୟ ବିନା ଦ୍ରାକ୍ଷାରସ ଓ ଦୁଗ୍ଧ କିଣ। 2ଅଖାଦ୍ୟ ଦ୍ରବ୍ୟ ନିମନ୍ତେ ତୁମ୍ଭେମାନେ କାହିଁକି ରୂପା ବ୍ୟୟ କରୁଅଛ? ଓ ଯାହା ତୃପ୍ତିକର ନୁହେଁ, ତହିଁ ପାଇଁ କାହିଁକି ତୁମ୍ଭେମାନେ ପରିଶ୍ରମ କରୁଅଛ? ମନୋଯୋଗ କରି ଆମ୍ଭର କଥା ଶୁଣ ଓ ଉତ୍ତମ ଦ୍ରବ୍ୟ ଭୋଜନ କର ଓ ପୁଷ୍ଟିକର ଦ୍ରବ୍ୟରେ ତୁମ୍ଭମାନଙ୍କର ପ୍ରାଣକୁ ସନ୍ତୁଷ୍ଟ ହେବାକୁ ଦିଅ। 3କର୍ଣ୍ଣ ଡେର ଓ ଆମ୍ଭ ନିକଟକୁ ଆସ; ଶୁଣ, ତହିଁରେ ତୁମ୍ଭମାନଙ୍କର ପ୍ରାଣ ବଞ୍ଚିବ; ପୁଣି, ଆମ୍ଭେ ତୁମ୍ଭମାନଙ୍କ ସହିତ ଏକ ନିତ୍ୟସ୍ଥାୟୀ ନିୟମ, ଅର୍ଥାତ୍‍, ଦାଉଦଙ୍କ ପ୍ରତି ନିଶ୍ଚିତ ଦୟା ସ୍ଥିର କରିବା। 4ଦେଖ, ଆମ୍ଭେ ତାହାଙ୍କୁ ଗୋଷ୍ଠୀବର୍ଗର ସାକ୍ଷୀ ରୂପେ, ଗୋଷ୍ଠୀବର୍ଗର ଅଗ୍ରଣୀ ଓ ଆଜ୍ଞାଦାତା ରୂପେ ନିଯୁକ୍ତ କରିଅଛୁ। 5ଦେଖ, ଯେଉଁ ଗୋଷ୍ଠୀକୁ ତୁମ୍ଭେ ଜାଣୁ ନାହଁ, ତାହାକୁ ତୁମ୍ଭେ ଆହ୍ୱାନ କରିବ ଓ ଯେଉଁ ଗୋଷ୍ଠୀ ତୁମ୍ଭକୁ ଜାଣିଲା ନାହିଁ, ସେ ତୁମ୍ଭ ନିକଟକୁ ଦୌଡ଼ିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ସକାଶୁ ଏହା ଘଟିବ; କାରଣ ସେ ତୁମ୍ଭଙ୍କୁ ଗୌରବାନ୍ୱିତ କରିଅଛନ୍ତି। 6ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଉଦ୍ଦେଶ୍ୟ ମିଳୁଅଛି, ସେପର୍ଯ୍ୟନ୍ତ ତୁମ୍ଭେମାନେ ତାହାଙ୍କର ଅନ୍ୱେଷଣ କର, ଯେପର୍ଯ୍ୟନ୍ତ ସେ ନିକଟରେ ଅଛନ୍ତି, ସେପର୍ଯ୍ୟନ୍ତ ତାହାଙ୍କଠାରେ ପ୍ରାର୍ଥନା କର। 7ଦୁଷ୍ଟ ଆପଣାର ପଥ ଓ ଅଧାର୍ମିକ ଆପଣା ସଂକଳ୍ପ ପରିତ୍ୟାଗ କରୁ; ପୁଣି, ସେ ସଦାପ୍ରଭୁଙ୍କ ପ୍ରତି ଫେରୁ, ତହିଁରେ ସେ ତାହାକୁ ଦୟା କରିବେ; ଆଉ, ସେ ଆମ୍ଭମାନଙ୍କର ପରମେଶ୍ୱରଙ୍କ ପ୍ରତି ଫେରୁ, କାରଣ ସେ ବହୁଳ ରୂପରେ କ୍ଷମା କରିବେ। 8ଯେହେତୁ ସଦାପ୍ରଭୁ କହନ୍ତି, ଆମ୍ଭର ସଂକଳ୍ପସକଳ ତୁମ୍ଭମାନଙ୍କର ସଂକଳ୍ପ ପରି ନୁହେଁ, କିଅବା ତୁମ୍ଭମାନଙ୍କର ମାର୍ଗସକଳ ଆମ୍ଭର ମାର୍ଗ ପରି ନୁହେଁ। 9କାରଣ ପୃଥିବୀ ଅପେକ୍ଷା ଆକାଶମଣ୍ଡଳ ଯେପରି ଉଚ୍ଚ, ସେହିପରି ଆମ୍ଭର ମାର୍ଗସକଳ ତୁମ୍ଭମାନଙ୍କର ମାର୍ଗ ଅପେକ୍ଷା ଓ ଆମ୍ଭର ସଂକଳ୍ପସକଳ ତୁମ୍ଭମାନଙ୍କ ସଂକଳ୍ପ ଅପେକ୍ଷା ଉଚ୍ଚତର ଅଟେ। 10ଯେହେତୁ ଯେପରି ବୃଷ୍ଟି ଓ ହିମ ଆକାଶରୁ ତଳକୁ ଆସେ ଓ ସେଠାକୁ ଫେରିଯାଏ ନାହିଁ, ମାତ୍ର ଭୂମିକୁ ସନ୍ତରା କରେ, ପୁଣି ଫଳବତୀ ଓ ତୃଣାଦି ଉତ୍ପନ୍ନ କରି ବପନକାରୀକୁ ବୀଜ ଓ ଭୋଜନକାରୀକୁ ଭକ୍ଷ୍ୟ ଦିଏ; 11ଆମ୍ଭ ମୁଖରୁ ନିର୍ଗତ ବାକ୍ୟ ସେହିପରି ହେବ; ତାହା ନିଷ୍ଫଳ ହୋଇ ଆମ୍ଭ ନିକଟକୁ ଫେରି ଆସିବ ନାହିଁ, ମାତ୍ର ଆମ୍ଭେ ଯାହା ଇଚ୍ଛା କରୁ, ତାହା ସିଦ୍ଧ କରିବା ଓ ଯେଉଁ କାର୍ଯ୍ୟ ପାଇଁ ଆମ୍ଭେ ପ୍ରେରଣ କରୁ, ତହିଁରେ କୃତାର୍ଥ ହେବ।

ପ୍ରତିଉତ୍ତର ଗୀତ

ଯିଶା 12:2–6

2ଦେଖ, “ପରମେଶ୍ୱର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ୱାସ କରିବା ଓ ଭୀତ ହେବା ନାହିଁ; କାରଣ ଯିହୋବାଃ ସଦାପ୍ରଭୁ ଆମ୍ଭର ବଳ ଓ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି।” 3ଏହେତୁ ତୁମ୍ଭେମାନେ ଆନନ୍ଦରେ ପରିତ୍ରାଣର କୂପସମୂହରୁ ଜଳ କାଢ଼ିବ। 4ପୁଣି, ସେହି ଦିନରେ ତୁମ୍ଭେମାନେ କହିବ, “ସଦାପ୍ରଭୁଙ୍କର ଧନ୍ୟବାଦ କର, ତାହାଙ୍କ ନାମରେ ପ୍ରାର୍ଥନା କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସକଳ ପ୍ରଚାର କର, ତାହାଙ୍କର ନାମ ଉନ୍ନତ ବୋଲି ବ୍ୟକ୍ତ କର। 5ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; କାରଣ ସେ ମହିମାଯୁକ୍ତ କର୍ମ କରିଅଛନ୍ତି; ତାହା ସମୁଦାୟ ପୃଥିବୀର ଜ୍ଞାତ ହେଉ। 6ହେ ସିୟୋନ ନିବାସିନୀ, ତୁମ୍ଭେ ଉଚ୍ଚସ୍ୱର କରି ଆନନ୍ଦଧ୍ୱନି କର; କାରଣ ଯେ ଇସ୍ରାଏଲର ଧର୍ମସ୍ୱରୂପ, ସେ ତୁମ୍ଭ ମଧ୍ୟରେ ମହାନ ଅଟନ୍ତି।”

ଦ୍ୱିତୀୟ ପାଠ

ପ୍ର. ଯୋହ 5:1–9

1ଯେ କେହି ଯୀଶୁଙ୍କୁ ଖ୍ରୀଷ୍ଟ ବୋଲି ବିଶ୍ୱାସ କରେ, ସେ ଈଶ୍ବରଙ୍କଠାରୁ ଜାତ; ଆଉ, ଯେ କେହି ଜନ୍ମଦାତାଙ୍କୁ ପ୍ରେମ କରେ, ସେ ତାହାଙ୍କଠାରୁ ଜାତ ହୋଇଥିବା ସନ୍ତାନମାନଙ୍କୁ ମଧ୍ୟ ପ୍ରେମ କରେ। 2ଆମ୍ଭେମାନେ ଯେତେବେଳେ ଈଶ୍ବରଙ୍କୁ ପ୍ରେମ କରୁ ଓ ତାହାଙ୍କ ଆଜ୍ଞା ପାଳନ କରୁ, ସେତେବେଳେ ତଦ୍ୱାରା ଜାଣି ପାରୁ ଯେ, ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନମାନଙ୍କୁ ପ୍ରେମ କରୁଅଛୁ। 3କାରଣ ଈଶ୍ବରଙ୍କୁ ପ୍ରେମ କରିବାର ଅର୍ଥ, ତାହାଙ୍କ ଆଜ୍ଞା ପାଳନ କରିବା, ଆଉ ତାହାଙ୍କ ଆଜ୍ଞାସବୁ ଭାର ସ୍ୱରୂପ ନୁହେଁ। 4ଯେ କେହି ଈଶ୍ବରଙ୍କଠାରୁ ଜାତ, ସେ ଜଗତକୁ ଜୟ କରେ, ଆଉ ଯାହା ଜଗତକୁ ଜୟ କରିଅଛି, ତାହା ଆମ୍ଭମାନଙ୍କର ବିଶ୍ୱାସ। 5ଯୀଶୁ ଈଶ୍ବରଙ୍କ ପୁତ୍ର, ଏହା ଯେ ବିଶ୍ୱାସ କରେ, ତାହା ଛଡ଼ା ଆଉ କିଏ ଜଗତକୁ ଜୟ କରେ? 6ସେହି ଯୀଶୁ ଖ୍ରୀଷ୍ଟ ଜଳ ଓ ରକ୍ତ ଦେଇ ଆସିଥିଲେ, କେବଳ ଜଳ ଦେଇ ନୁହେଁ, କିନ୍ତୁ ଜଳ ଓ ରକ୍ତ ଉଭୟ ଦେଇ ଆସିଥିଲେ; 7ଆଉ ଆତ୍ମା ମଧ୍ୟ ଏଥିର ସାକ୍ଷ୍ୟ ଦିଅନ୍ତି, କାରଣ ଆତ୍ମା ହିଁ ସତ୍ୟ। 8ଆତ୍ମା, ଜଳ ଓ ରକ୍ତ, ଏହି ତିନି ସାକ୍ଷ୍ୟ ଦିଅନ୍ତି, ପୁଣି ତିନିର ସାକ୍ଷ୍ୟ ଏକ। 9ଆମ୍ଭେମାନେ ଯଦି ମନୁଷ୍ୟର ସାକ୍ଷ୍ୟ ଗ୍ରହଣ କରୁ, ତେବେ ଈଶ୍ବରଙ୍କ ସାକ୍ଷ୍ୟ ତାହାଠାରୁ ଶ୍ରେଷ୍ଠ, ଆଉ ଈଶ୍ବରଙ୍କ ସାକ୍ଷ୍ୟ ଏହା ଯେ, ସେ ଆପଣାର ପୁତ୍ରଙ୍କ ସମ୍ବନ୍ଧରେ ସାକ୍ଷ୍ୟ ଦେଇଅଛନ୍ତି।

ସୁସମାଚାର

ମାର୍କ 1:7–11

7ସେ ଘୋଷଣା କରି କହିବାକୁ ଲାଗିଲେ, “ମୋʼଠାରୁ ଯେ ଅଧିକ ଶକ୍ତିମାନ, ସେ ମୋʼ ଉତ୍ତାରେ ଆସୁଅଛନ୍ତି; ମୁଁ ଅବନତ ହୋଇ ତାହାଙ୍କ ପାଦୁକାର ବନ୍ଧନ ଫିଟାଇବାକୁ ଯୋଗ୍ୟ ନୁହେଁ। 8ମୁଁ ତୁମ୍ଭମାନଙ୍କୁ ଜଳରେ ବାପ୍ତିସ୍ମ ଦେଲି, ମାତ୍ର ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମାରେ ବାପ୍ତିସ୍ମ ଦେବେ।” 9ସେହି ସମୟରେ ଯୀଶୁ ଗାଲିଲୀର ନାଜରିତରୁ ଆସି ଯର୍ଦ୍ଦନ ନଦୀରେ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେଲେ। 10ଆଉ, ସେହିକ୍ଷଣି ସେ ଜଳରୁ ଉଠି ଆସିବା ସମୟରେ ଆକାଶ ଉନ୍ମୁକ୍ତ ହେବା ଓ ପବିତ୍ର ଆତ୍ମାଙ୍କୁ କପୋତ ପରି ଆପଣା ଉପରକୁ ଓହ୍ଲାଇ ଆସିବା ଦେଖିଲେ, 11ପୁଣି, ଆକାଶରୁ ଏହି ବାଣୀ ହେଲା, “ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ।”

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର