ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜାନୁଆରୀ 2027 › ଜାନୁଆରୀ 10
ଅର୍ଥୋଡକ୍ସ ପଞ୍ଜିକା · 28 ଡିସେମ୍ବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 10 ଜାନୁଆରୀ 2027
ରବିବାର · ସ୍ୱର 7
ପର୍ବ ଓ ସନ୍ଥ
ପେଣ୍ଟିକଷ୍ଟ ପରେ 32ତମ ରବିବାର
ଜନ୍ମ ପର୍ବ ପରର ରବିବାର
ଖ୍ରୀଷ୍ଟଜନ୍ମ ଋତୁ (Svyatki)
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପ୍ରଭାତୀ ପ୍ରାର୍ଥନାର ଦଶମ ସୁସମାଚାର
1ଏଥିଉତ୍ତାରେ ଯୀଶୁ ତିବିରୀୟା ହ୍ରଦର କୂଳରେ ଶିଷ୍ୟମାନଙ୍କୁ ପୁନର୍ବାର ଦର୍ଶନ ଦେଲେ। ସେ ଏହି ପ୍ରକାରେ ଦର୍ଶନ ଦେଲେ; 2ଶିମୋନ ପିତର, ଥୋମା, ଯାହାଙ୍କୁ ଦିଦୁମ କହନ୍ତି, ଗାଲିଲୀର କାନ୍ନାନିବାସୀ ନିଥନିୟେଲ, ଜେବଦୀଙ୍କ ପୁତ୍ରମାନେ ଓ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଆଉ ଦୁଇ ଜଣ ଏକତ୍ର ଥିଲେ। 3ଶିମୋନ ପିତର ସେମାନଙ୍କୁ କହିଲେ, ମୁଁ ମାଛ ଧରିବାକୁ ଯାଉଅଛି। ସେମାନେ ତାହାଙ୍କୁ କହିଲେ, ଆମ୍ଭେମାନେ ମଧ୍ୟ ତୁମ୍ଭ ସାଙ୍ଗରେ ଯିବୁ। ସେମାନେ ବାହାରିଯାଇ ନୌକାରେ ଚଢ଼ିଲେ, ଆଉ ସେହି ରାତିରେ କିଛି ଧରି ପାରିଲେ ନାହିଁ। 4କିନ୍ତୁ ପାହାନ୍ତା ହେଲା ଉତ୍ତାରେ ଯୀଶୁ କୂଳରେ ଠିଆ ହେଲେ; ତଥାପି ସେ ଯୀଶୁ ବୋଲି ଶିଷ୍ୟମାନେ ଜାଣିଲେ ନାହିଁ। 5ଯୀଶୁ ସେମାନଙ୍କୁ କହିଲେ, “ପିଲାମାନେ ତୁମ୍ଭମାନଙ୍କ ପାଖରେ କଅଣ କିଛି ଖାଇବାର ଅଛି?” ସେମାନେ ତାହାଙ୍କୁ ଉତ୍ତର ଦେଲେ, ନାହିଁ। 6ସେ ସେମାନଙ୍କୁ କହିଲେ, “ନୌକାର ଡାହାଣ ପାଖରେ ଜାଲ ପକାଅ, ଆଉ ତୁମ୍ଭେମାନେ ପାଇବ।” ସେଥିରେ ସେମାନେ ଜାଲ ପକାଇଲେ, ଆଉ ଏତେ ମାଛ ପଡ଼ିଲା ଯେ, ସେମାନେ ତାହା ଟାଣି ପାରିଲେ ନାହିଁ। 7ସେଥିରେ ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ, ସେ ପିତରଙ୍କୁ କହିଲେ, ଏ ତ ପ୍ରଭୁ। ଶିମୋନ ପିତର ଏ ତ ପ୍ରଭୁ ବୋଲି ଶୁଣି ଅଙ୍ଗରଖା ନ ପିନ୍ଧି ଥିବାରୁ ଆପଣା ଅଙ୍ଗରଖା ପିନ୍ଧି ସମୁଦ୍ରକୁ ଡେଇଁପଡ଼ିଲେ; 8କିନ୍ତୁ ଅନ୍ୟ ଶିଷ୍ୟମାନେ ନୌକାରେ ଭର୍ତ୍ତି ହୋଇଥିବା ମାଛର ଜାଲ ଟାଣି ଟାଣି ନୌକାକୁ ଆସିଲେ, କାରଣ ସେମାନେ କୂଳରୁ ଅଧିକ ଦୂରରେ ନ ଥିଲେ, କେବଳ ପ୍ରାୟ ଦୁଇ ଶହ ହାତ ଦୂରରେ ଥିଲେ। 9ସେମାନେ କୂଳରେ ଓହ୍ଲାଇ ସେଠାରେ ଅଙ୍ଗାରର ନିଆଁ, ପୁଣି, ତାହା ଉପରେ ଭଜା ମାଛ ଓ ରୁଟି ଥୁଆ ହୋଇଥିବା ଦେଖିଲେ। 10ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଏବେ ଯେଉଁ ମାଛ ଧରିଅଛ, ସେଥିରୁ କିଛି ଆଣ।” 11ଶିମୋନ ପିତର ଯାଇ ଏକ ଶହ ତେପନ ବଡ଼ ବଡ଼ ମାଛରେ ଭର୍ତ୍ତି ହୋଇଥିବା ଜାଲ କୂଳକୁ ଟାଣି ଆଣିଲେ; ଆଉ ଏତେ ମାଛରେ ସୁଦ୍ଧା ଜାଲ ଛିଣ୍ଡିଲା ନାହିଁ। 12ଯୀଶୁ ସେମାନଙ୍କୁ କହିଲେ, “ଆସି ଭୋଜନ କର।” ଶିଷ୍ୟମାନଙ୍କ ମଧ୍ୟରୁ କେହି ତୁମ୍ଭେ କିଏ ବୋଲି ତାହାଙ୍କୁ ପଚାରିବାକୁ ସାହସ କରୁ ନ ଥିଲେ, କାରଣ ସେ ଯେ ପ୍ରଭୁ, ଏହା ସେମାନେ ଜାଣିଥିଲେ। 13ଯୀଶୁ ଆସି ରୁଟି ଘେନି ସେମାନଙ୍କୁ ଦେଲେ, ଆଉ ସେହି ପ୍ରକାରେ ମାଛ ମଧ୍ୟ ଦେଲେ। 14ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହେଲା ଉତ୍ତାରେ ଯୀଶୁ ଶିଷ୍ୟମାନଙ୍କୁ ଏହି ତୃତୀୟ ଥର ଦର୍ଶନ ଦେଲେ।
ପତ୍ର (ଖ୍ରୀଷ୍ଟଙ୍କ ଜନ୍ମ ପରର ରବିବାର ପାଇଁ)
11କାରଣ, ହେ ଭାଇମାନେ, ଯେଉଁ ସୁସମାଚାର ମୋʼ ଦ୍ୱାରା ପ୍ରଚାରିତ ହୋଇଅଛି, ସେ ସମ୍ବନ୍ଧରେ ତୁମ୍ଭମାନଙ୍କୁ ଜଣାଉଅଛି ଯେ, ତାହା ମନୁଷ୍ୟର ମତାନୁସାରେ ନୁହେଁ; 12ଯେଣୁ ମୁଁ ତାହା ମନୁଷ୍ୟଠାରୁ ପାଇ ନାହିଁ କିଅବା ଶିକ୍ଷା କରି ନାହିଁ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତ୍ୟାଦେଶ ଦ୍ୱାରା ପାଇଅଛି। 13ପୂର୍ବେ ଯିହୁଦୀ ଧର୍ମରେ ମୋହର ଆଚରଣ ସମ୍ବନ୍ଧରେ ତୁମ୍ଭେମାନେ ତ ଶୁଣିଅଛ, ମୁଁ ଈଶ୍ବରଙ୍କ ମଣ୍ଡଳୀ କି ଅତିରିକ୍ତ ଭାବରେ ତାଡ଼ନା କରୁଥିଲି ଓ ତାହା ଉଚ୍ଛିନ୍ନ କରିବାକୁ ଚେଷ୍ଟା କରୁଥିଲି, 14ଆଉ, ମୋହର ପିତୃ-ପୁରୁଷଙ୍କ ପରମ୍ପରାଗତ ରୀତିନୀତି ନିମନ୍ତେ ଅତ୍ୟନ୍ତ ଉଦ୍ଯୋଗୀ ହୋଇ ମୋହର ସମବୟସ୍କ ସ୍ୱଜାତି ଲୋକମାନଙ୍କ ମଧ୍ୟରେ ଅନେକଙ୍କଠାରୁ ବଳି ଯିହୁଦୀ ଧର୍ମରେ ଅଗ୍ରସର ହେଉଥିଲି। 15କିନ୍ତୁ ଯେ ମୋହର ମାତାଙ୍କ ଉଦରରୁ ମୋତେ ପୃଥକ୍ କରିଥିଲେ ଓ ଆପଣା ଅନୁଗ୍ରହରେ ମୋତେ ଆହ୍ୱାନ କଲେ, 16ସେ ଯେତେବେଳେ ଆପଣା ପୁତ୍ରଙ୍କୁ ମୋʼ ଠାରେ ପ୍ରକାଶ କରିବା ନିମନ୍ତେ ସନ୍ତୁଷ୍ଟ ହେଲେ, ଯେପରି ମୁଁ ଅଣଯିହୁଦୀମାନଙ୍କ ମଧ୍ୟରେ ସୁସମାଚାର ପ୍ରଚାର କରେ, ସେତେବେଳେ ମୁଁ ମନୁଷ୍ୟଠାରୁ କୌଣସି ପରାମର୍ଶ ନ ନେଇ 17କିଅବା ମୋʼ ପୂର୍ବରେ ନିଯୁକ୍ତ ପ୍ରେରିତମାନଙ୍କ ନିକଟକୁ ଯିରୂଶାଲମ ସହରକୁ ନ ଯାଇ ସେହିକ୍ଷଣି ଆରବ ଦେଶକୁ ବାହାରିଗଲି; ପୁନଶ୍ଚ ମୁଁ ଦମ୍ମେଶକ ସହରକୁ ବାହୁଡ଼ି ଆସିଲି। 18ତାହା ପରେ ତିନି ବର୍ଷ ଉତ୍ତାରେ ମୁଁ ପିତରଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ଯିରୂଶାଲମ ସହରକୁ ଗଲି ଓ ତାହାଙ୍କ ସହିତ ପନ୍ଦର ଦିନ ରହିଲି। 19କିନ୍ତୁ ପ୍ରଭୁଙ୍କ ଭାଇ ଯାକୁବଙ୍କ ଛଡ଼ା ପ୍ରେରିତମାନଙ୍କର ଅନ୍ୟ କାହାରିକୁ ଦେଖିଲି ନାହିଁ।
ସୁସମାଚାର (ଖ୍ରୀଷ୍ଟଙ୍କ ଜନ୍ମ ପରର ରବିବାର ଓ ଈଶ୍ବରଜନନୀଙ୍କ ପାଇଁ)
13ସେମାନେ ଚାଲିଯିବା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ଯୋଷେଫଙ୍କୁ ଦର୍ଶନ ଦେଇ କହିଲେ, “ଉଠ, ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ମିସରକୁ ପଳାଅ, ପୁଣି, ଆମ୍ଭେ ତୁମ୍ଭକୁ ନ କହିବା ପର୍ଯ୍ୟନ୍ତ ସେଠାରେ ରୁହ, କାରଣ ଶିଶୁଙ୍କୁ ବିନାଶ କରିବା ନିମନ୍ତେ ହେରୋଦ ତାହାଙ୍କୁ ଅନ୍ୱେଷଣ କରିବାକୁ ଉଦ୍ୟତ।” 14ଏଥିରେ ସେ ଉଠି ରାତ୍ରିରେ ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ମିସରକୁ ପଳାଇଗଲେ, 15ଆଉ ହେରୋଦଙ୍କ ମରଣ ପର୍ଯ୍ୟନ୍ତ ସେଠାରେ ରହିଲେ, ଯେପରି ଭାବବାଦୀଙ୍କ ଦ୍ୱାରା ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ସଫଳ ହୁଏ, “ମିସରରୁ ଆମ୍ଭେ ଆପଣା ପୁତ୍ରଙ୍କୁ ଆହ୍ୱାନ କଲୁ।” 16ଇତିମଧ୍ୟରେ ହେରୋଦ ପଣ୍ଡିତମାନଙ୍କ ଦ୍ୱାରା ଆପଣାକୁ ପ୍ରବଞ୍ଚିତ ହେବା ଦେଖି ରାଗିଗଲେ, ଆଉ ସେମାନଙ୍କ ନିକଟରୁ ଉତ୍ତମ ରୂପେ ଯେଉଁ ସମୟରେ ବୁଝିଥିଲେ, ତଦନୁସାରେ ଦୁଇ ବର୍ଷ ଓ ସେଥିରୁ କମ୍ ବୟସ୍କ ଯେତେ ବାଳକ ବେଥଲିହିମ ପୁଣି, ସେଥିର ସମସ୍ତ ସୀମା ମଧ୍ୟରେ ଥିଲେ, ଲୋକ ପଠାଇ ସେହି ସମସ୍ତଙ୍କୁ ବଧ କରାଇଲେ। 17ସେତେବେଳେ ଯିରିମୀୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହେଲା, 18“ରାମାରେ ସ୍ୱର ଶୁଣାଗଲା, ରୋଦନ ଓ ଅତିଶୟ ବିଳାପ, ରାହେଲ ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କରୁଥିଲେ; ଆଉ ସେମାନେ ନାହାନ୍ତି ବୋଲି ସେ ସାନ୍ତ୍ୱନାର କଥା ମାନିବାକୁ ଇଚ୍ଛା କରୁ ନ ଥିଲେ।” 19ହେରୋଦଙ୍କ ମୃତ୍ୟୁ ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ମିସରରେ ଯୋଷେଫଙ୍କୁ ସ୍ୱପ୍ନରେ ଦର୍ଶନ ଦେଇ କହିଲେ, 20“ଉଠ, ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ଇସ୍ରାଏଲ ଦେଶକୁ ଯାଅ, କାରଣ ଯେଉଁମାନେ ଶିଶୁଙ୍କ ପ୍ରାଣ ବିନାଶ କରିବା ନିମନ୍ତେ ଚେଷ୍ଟା କରୁଥିଲେ, ସେମାନଙ୍କର ମୃତ୍ୟୁ ଘଟିଅଛି।” 21ସେଥିରେ ସେ ଉଠି ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ଇସ୍ରାଏଲ ଦେଶକୁ ଆସିଲେ। 22ମାତ୍ର ଆର୍ଖିଲାୟ ଆପଣା ପିତା ହେରୋଦଙ୍କ ସ୍ଥାନରେ ଯିହୂଦିୟା ପ୍ରଦେଶର ରାଜା ହୋଇଅଛନ୍ତି, ଏହା ଶୁଣି ସେଠାକୁ ଯିବା ପାଇଁ ସେ ଭୟ କଲେ; କିନ୍ତୁ ସ୍ୱପ୍ନରେ ପ୍ରତ୍ୟାଦେଶ ପାଇ ସେ ଗାଲିଲୀ ଅଞ୍ଚଳକୁ ପଳାଇଗଲେ 23ଓ ନାଜରିତ ନାମକ ନଗରରେ ଯାଇ ବାସ କଲେ, ଯେପରି ଭାବବାଦୀମାନଙ୍କ ଦ୍ୱାରା ଉକ୍ତ ବାକ୍ୟ ସଫଳ ହୁଏ ଯେ, “ସେ ନାଜରିତୀୟ ବୋଲି ଖ୍ୟାତ ହେବେ।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଡିସେମ୍ବର 28 ନାଗରିକ ପଞ୍ଜିକାର ଜାନୁଆରୀ 10। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର