Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜାନୁଆରୀ 2027 › ଜାନୁଆରୀ 15

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 15 ଜାନୁଆରୀ 2027

ଶୁକ୍ରବାର · ସାଧାରଣ କାଳର ପ୍ରଥମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର ପ୍ରଥମ ସପ୍ତାହର ଶୁକ୍ରବାର

ସାଧାରଣ ଦିନ · ଉପାସନାର ରଙ୍ଗ: ସବୁଜ

ଉପବାସ ଓ ପ୍ରାୟଶ୍ଚିତ୍ତ

ପ୍ରାୟଶ୍ଚିତ୍ତର ଦିନ

ପ୍ରତ୍ୟେକ ଶୁକ୍ରବାର ପ୍ରାୟଶ୍ଚିତ୍ତର ଦିନ; ପ୍ରତ୍ୟେକ ବିଶପ୍ ସମ୍ମିଳନୀ ଏହା କିପରି ପାଳିବାକୁ ହେବ ସ୍ଥିର କରେ: ମାଂସରୁ ବିରତି କିମ୍ବା ପ୍ରାୟଶ୍ଚିତ୍ତର ଅନ୍ୟ କାର୍ଯ୍ୟ। ଉପବାସ 18ରୁ 59 ବର୍ଷ ପର୍ଯ୍ୟନ୍ତ, ବିରତି 14 ବର୍ଷରୁ ବାଧ୍ୟତାମୂଳକ।

ଦିନର ପାଠ

ପ୍ରଥମ ପାଠ

ଏବ୍ରୀ 4:1–5, 11

1ଅତଏବ ଆସ, ଆମ୍ଭେମାନେ ଭୟ କରୁ, କାଳେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିବାର ପ୍ରତିଜ୍ଞା ଥିବା ସ୍ଥଳେ ସୁଦ୍ଧା ତୁମ୍ଭମାନଙ୍କ ମଧ୍ୟରୁ କେହି ସେଥିରୁ ବଞ୍ଚିତ ହେଲା ପରି ଦେଖାଯାଏ। 2କାରଣ ସେମାନଙ୍କ ନିକଟରେ ଯେପରି, ଆମ୍ଭମାନଙ୍କ ନିକଟରେ ମଧ୍ୟ ସେହିପରି ସୁସମାଚାର ପ୍ରଚାରିତ ହୋଇଅଛି, କିନ୍ତୁ ଶ୍ରୋତାମାନେ ବିଶ୍ୱାସ ଦ୍ୱାରା ଶୁଣିଥିବା ବାକ୍ୟ ନିଜସ୍ୱ ନ କରିବାରୁ ତାହା ସେମାନଙ୍କ ପକ୍ଷରେ ଲାଭଜନକ ହେଲା ନାହିଁ। 3ଯେଣୁ ବିଶ୍ୱାସ କରିଅଛୁ ଯେ ଆମ୍ଭେମାନେ, କେବଳ ଆମ୍ଭେମାନେ ସେହି ବିଶ୍ରାମରେ ପ୍ରବେଶ କରିବା, ଯେପରି ସେ କହିଅଛନ୍ତି, “ଏଣୁ ଆମ୍ଭେ ଆପଣା କ୍ରୋଧରେ ଶପଥ କଲୁ, ‘ସେମାନେ ଆମ୍ଭର ବିଶ୍ରାମରେ ପ୍ରବେଶ କରିବେ ନାହିଁ।’” କିନ୍ତୁ ଜଗତର ପତ୍ତନ ସମୟଠାରୁ ସମସ୍ତ କର୍ମ ସମାପ୍ତ ହୋଇଥିଲା; 4କାରଣ ସପ୍ତମ ଦିନ ସମ୍ବନ୍ଧରେ ସେ ଶାସ୍ତ୍ରରେ ଏହା କହିଅଛନ୍ତି, “ଈଶ୍ବର ସପ୍ତମ ଦିନରେ ଆପଣାର ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ;” 5ଆଉ ଏହି ସ୍ଥାନରେ ସେ ପୁନଶ୍ଚ କହିଅଛନ୍ତି, “ସେମାନେ ଆମ୍ଭର ବିଶ୍ରାମରେ ପ୍ରବେଶ କରିବେ ନାହିଁ।” 11ଏଣୁ ଆସ, ଆମ୍ଭେମାନେ ସେହି ବିଶ୍ରାମରେ ପ୍ରବେଶ କରିବାକୁ ଯତ୍ନ କରୁ, ଯେପରି କୌଣସି ଲୋକ ଅବାଧ୍ୟତାର ସେହି ଦୃଷ୍ଟାନ୍ତ ଅନୁସାରେ ପତିତ ନ ହୁଏ।

ପ୍ରତିଉତ୍ତର ଗୀତ

ଗୀତ 78:3–4, 6–8

3ଆମ୍ଭେମାନେ ତାହାସବୁ ଶୁଣି ଜାଣିଅଛୁ ଓ ଆମ୍ଭମାନଙ୍କ ପିତୃଗଣ ଆମ୍ଭମାନଙ୍କୁ ଜଣାଇ ଅଛନ୍ତି। 4ଆମ୍ଭେମାନେ ତାହାସବୁ ସେମାନଙ୍କ ସନ୍ତାନଗଣଠାରୁ ଗୁପ୍ତ ରଖିବା ନାହିଁ, ଆସନ୍ତା ପିଢ଼ି ନିକଟରେ ସଦାପ୍ରଭୁଙ୍କର ପ୍ରଶଂସା ଓ ତାହାଙ୍କର ପରାକ୍ରମ ଓ ତାହାଙ୍କ କୃତ ଆଶ୍ଚର୍ଯ୍ୟ-କର୍ମସକଳ ବର୍ଣ୍ଣନା କରିବା। 6ଯେପରି ଆସନ୍ତା ପୁରୁଷ, ଅର୍ଥାତ୍‍, ଯେଉଁ ସନ୍ତାନଗଣ ଜାତ ହେବେ, ସେମାନେ ଜାଣିବେ ଓ ଉଠି ଆପଣା ଆପଣା ସନ୍ତାନଗଣକୁ ତାହା ଜଣାଇବେ; 7ତହିଁରେ ସେମାନେ ଯେପରି ପରମେଶ୍ୱରଙ୍କଠାରେ ଭରସା ରଖି ପାରିବେ ଓ ପରମେଶ୍ୱରଙ୍କ କ୍ରିୟାସକଳ ପାସୋରି ନ ଯିବେ, ମାତ୍ର ତାହାଙ୍କ ଆଜ୍ଞାସବୁ ପାଳନ କରିବେ; 8ପୁଣି, ଆପଣା ପିତୃଗଣ ତୁଲ୍ୟ ଅବାଧ୍ୟ ଓ ବିଦ୍ରୋହୀ ବଂଶ ହେବେ ନାହିଁ; ସେହି ବଂଶ ଆପଣା ଆପଣା ଅନ୍ତଃକରଣ ଯଥାର୍ଥ ରୂପେ ସୁସ୍ଥିର କଲେ ନାହିଁ; ଓ ସେମାନଙ୍କ ଆତ୍ମା ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ନ ଥିଲା।

ସୁସମାଚାର

ମାର୍କ 2:1–12

1କେତେକ ଦିନ ଉତ୍ତାରେ ଯୀଶୁ ପୁନର୍ବାର କଫର୍ନାହୂମରେ ପ୍ରବେଶ କରନ୍ତେ ସେ ଗୃହରେ ଅଛନ୍ତି ବୋଲି ଜନରବ ହେଲା। 2ସେଥିରେ ଏତେ ଲୋକ ଏକତ୍ର ହେଲେ ଯେ, ଦ୍ୱାର ପାଖରେ ସୁଦ୍ଧା ଆଉ ସ୍ଥାନ ରହିଲା ନାହିଁ, ପୁଣି, ସେ ସେମାନଙ୍କ ନିକଟରେ ବାକ୍ୟ ପ୍ରଚାର କରିବାକୁ ଲାଗିଲେ। 3ଇତିମଧ୍ୟରେ ଲୋକେ ଜଣେ ପକ୍ଷାଘାତ ରୋଗୀକୁ ଚାରି ଜଣଙ୍କ ଦ୍ୱାରା ବୁହାଇ ତାହାଙ୍କ ନିକଟକୁ ଘେନି ଆସିଲେ, 4କିନ୍ତୁ ଭିଡ଼ ହେତୁ ତାହାଙ୍କ ପାଖକୁ ଆଣି ନ ପାରିବାରୁ, ସେ ଯେଉଁ ସ୍ଥାନରେ ଥିଲେ, ସେହି ସ୍ଥାନର ଛାତ ଖୋଳି କାଢ଼ିପକାଇଲେ, ଆଉ ତାହା ଭାଙ୍ଗି, ଯେଉଁ ଖଟିଆରେ ପକ୍ଷାଘାତ ରୋଗୀଟି ଶୋଇଥିଲା, ତାହା ଓହ୍ଲାଇଦେଲେ। 5ଯୀଶୁ ସେମାନଙ୍କର ବିଶ୍ୱାସ ଦେଖି ସେହି ପକ୍ଷାଘାତ ରୋଗୀକୁ କହିଲେ, “ବତ୍ସ, ତୁମ୍ଭର ପାପସବୁ କ୍ଷମା କରାଗଲା।” 6କିନ୍ତୁ ଶାସ୍ତ୍ରୀମାନଙ୍କ ମଧ୍ୟରୁ କେତେକ ସେ ସ୍ଥାନରେ ବସି ଆପଣା ଆପଣା ମନରେ ଏହା ତର୍କବିତର୍କ କରୁଥିଲେ, 7ଏ ଲୋକ କାହିଁକି ଏପରି କହୁଅଛି? ସେ ଈଶ୍ବର ନିନ୍ଦା କରୁଅଛି; କେବଳ ଜଣଙ୍କ ବିନା, ଅର୍ଥାତ୍‍ ଈଶ୍ବରଙ୍କ ବିନା ଆଉ କିଏ ପାପ କ୍ଷମା କରିପାରେ? 8ସେମାନେ ଯେ ମନେ ମନେ ଏପରି ତର୍କବିତର୍କ କରୁଅଛନ୍ତି, ତାହା ଯୀଶୁ ନିଜ ଆତ୍ମାରେ ସେହିକ୍ଷଣି ଜ୍ଞାତ ହୋଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ଆପଣା ମନରେ କାହିଁକି ଏହି ସମସ୍ତ ତର୍କବିତର୍କ କରୁଅଛ? 9କଅଣ ସହଜ? ପକ୍ଷାଘାତ ରୋଗୀକୁ ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା, କିଅବା, ଉଠ, ତୁମ୍ଭର ଖଟିଆ ଘେନି ଚାଲ ବୋଲି କହିବା? 10କିନ୍ତୁ ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର,” ଏଥିପାଇଁ ସେ ପକ୍ଷାଘାତ ରୋଗୀକୁ କହିଲେ, 11“ମୁଁ ତୁମ୍ଭକୁ କହୁଅଛି, ଉଠ; ନିଜ ଖଟିଆ ଘେନି ଆପଣା ଘରକୁ ଚାଲିଯାଅ।” 12ସେଥିରେ ସେ ଉଠି ତତ୍‌କ୍ଷଣାତ୍ ଖଟିଆ ଘେନି ସମସ୍ତଙ୍କ ସାକ୍ଷାତରେ ବାହାରିଗଲା; ତହିଁରେ ସମସ୍ତେ ଆଚମ୍ଭିତ ହୋଇ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ କରୁ କହିଲେ, ଆମ୍ଭେମାନେ ଏପରି କେବେ ହେଁ ଦେଖି ନ ଥିଲୁ।

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର