ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜାନୁଆରୀ 2027 › ଜାନୁଆରୀ 17
ଅର୍ଥୋଡକ୍ସ ପଞ୍ଜିକା · 4 ଜାନୁଆରୀ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 17 ଜାନୁଆରୀ 2027
ରବିବାର · ସ୍ୱର 8
ପର୍ବ ଓ ସନ୍ଥ
ପେଣ୍ଟିକଷ୍ଟ ପରେ 33ତମ ରବିବାର
ଈଶ୍ବରପ୍ରକାଶ ପୂର୍ବର ରବିବାର
ଖ୍ରୀଷ୍ଟଜନ୍ମ ଋତୁ (Svyatki)
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପ୍ରଭାତୀ ପ୍ରାର୍ଥନାର 11ତମ ସୁସମାଚାର
15ସେମାନେ ଭୋଜନ କଲା ଉତ୍ତାରେ ଯୀଶୁ ଶିମୋନ ପିତରଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ଏମାନଙ୍କଠାରୁ ଅଧିକ ପ୍ରେମ କରୁଅଛ?” ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ସେ ତାହାଙ୍କୁ କହିଲେ, “ମୋହର ମେଷଶାବକମାନଙ୍କୁ ଚରାଅ।” 16ସେ ପୁନର୍ବାର ଦ୍ୱିତୀୟ ଥର ତାହାଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ପ୍ରେମ କରୁଅଛ?” ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ସେ ତାହାଙ୍କୁ କହିଲେ, “ମୋହର ମେଷମାନଙ୍କୁ ପ୍ରତିପାଳନ କର।” 17ସେ ତୃତୀୟ ଥର ତାହାଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ? ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ,” ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ଯୀଶୁ ତାହାଙ୍କୁ କହିଲେ, “ମୋହର ମେଷମାନଙ୍କୁ ଚରାଅ। 18ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଯୁବକ ଥିବା ସମୟରେ ତୁମ୍ଭେ ଆପଣା କଟି ବନ୍ଧନ କରି ଯେଉଁ ଆଡ଼େ ଇଚ୍ଛା, ସେହି ଆଡ଼େ ଭ୍ରମଣ କରୁଥିଲ, କିନ୍ତୁ ବୃଦ୍ଧ ହେଲେ ତୁମ୍ଭେ ଆପଣା ହସ୍ତ ବିସ୍ତାର କରିବ ଓ ଅନ୍ୟ ଜଣେ ତୁମ୍ଭର କଟି ବନ୍ଧନ କରି, ଯେଉଁ ଆଡ଼େ ତୁମ୍ଭର ଇଚ୍ଛା ନ ଥିବ, ସେଆଡ଼େ ତୁମ୍ଭକୁ ଘେନିଯିବ।” 19ସେ କେଉଁ ପ୍ରକାର ମୃତ୍ୟୁଭୋଗ ଦ୍ୱାରା ଈଶ୍ବରଙ୍କୁ ଗୌରବାନ୍ୱିତ କରିବେ, ସେଥିର ସୂଚନା ଦେଇ ସେ ଏହା କହିଲେ। ଏହା କହିଲା ଉତ୍ତାରେ ସେ ତାହାଙ୍କୁ କହିଲେ, “ମୋହର ଅନୁଗାମୀ ହୁଅ।” 20ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ ଓ ଯେ ମଧ୍ୟ ରାତ୍ରିଭୋଜ ସମୟରେ ତାହାଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି, ପ୍ରଭୁ, ଆପଣଙ୍କୁ କିଏ ଶତ୍ରୁ ହସ୍ତରେ ସମର୍ପଣ କରିବ ବୋଲି ପଚାରିଥିଲେ, ସେହି ଶିଷ୍ୟଙ୍କୁ ପିତର ବୁଲିପଡ଼ି ପଛରେ ଆସୁଥିବା ଦେଖିଲେ। 21ପିତର ତାହାଙ୍କୁ ଦେଖି ଯୀଶୁଙ୍କୁ ପଚାରିଲେ, ପ୍ରଭୁ, ଏହାର ବିଷୟରେ କଅଣ? 22ଯୀଶୁ ତାହାଙ୍କୁ କହିଲେ, “ମୋହର ଆଗମନ ପର୍ଯ୍ୟନ୍ତ ସେ ରହୁ ବୋଲି ଯଦି ମୁଁ ଇଚ୍ଛା କରେ, ତାହାହେଲେ ସେଥିରେ ତୁମ୍ଭର କଅଣ ଅଛି? ତୁମ୍ଭେ ମୋହର ଅନୁଗାମୀ ହୁଅ।” 23ସେଥିରେ ସେହି ଶିଷ୍ୟ ଯେ ମରିବ ନାହିଁ, ଭାଇମାନଙ୍କ ମଧ୍ୟରେ ଏହି କଥା ବ୍ୟାପିଗଲା, ମାତ୍ର ସେ ମରିବ ନାହିଁ ବୋଲି ଯୀଶୁ ତାହାଙ୍କୁ କହି ନ ଥିଲେ, “କିନ୍ତୁ ମୋହର ଆଗମନ ପର୍ଯ୍ୟନ୍ତ ସେ ରହୁ ବୋଲି ଯଦି ମୁଁ ଇଚ୍ଛା କରେ, ତାହାହେଲେ ସେଥିରେ ତୁମ୍ଭର କଅଣ ଅଛି” ବୋଲି କହିଥିଲେ। 24ଯେ ଏହି ସମସ୍ତ ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି ଓ ଏହି ସମସ୍ତ ଲେଖିଅଛନ୍ତି, ସେ ସେହି ଶିଷ୍ୟ; ଆଉ, ତାହାଙ୍କ ସାକ୍ଷ୍ୟ ଯେ ସତ୍ୟ, ତାହା ଆମ୍ଭେମାନେ ଜାଣୁ। 25ପୁଣି, ଯୀଶୁ ଆହୁରି ଅନେକ ଅନେକ କର୍ମ ମଧ୍ୟ କରିଥିଲେ; ସେହିସବୁ ଯଦି ଗୋଟି ଗୋଟି କରି ଲେଖା ଯାଆନ୍ତା, ତାହାହେଲେ ଏତେ ପୁସ୍ତକ ଲେଖା ହୁଅନ୍ତା ଯେ, ମୋହର ବିଚାରରେ ସମୁଦାୟ ଜଗତରେ ସୁଦ୍ଧା ସେହିସବୁ ରଖିବା ନିମନ୍ତେ ସ୍ଥାନ ହୁଅନ୍ତା ନାହିଁ।
ପତ୍ର (ଈଶ୍ବରପ୍ରକାଶ ପୂର୍ବର ରବିବାର ପାଇଁ)
5କିନ୍ତୁ ତୁମ୍ଭେ ସମସ୍ତ ବିଷୟରେ ସଚେତନ ହୁଅ, କ୍ଲେଶ ସହ୍ୟ କର, ସୁସମାଚାର ପ୍ରଚାର କର, କାର୍ଯ୍ୟ ସାଧନ କର, ତୁମ୍ଭ ସେବାର କାର୍ଯ୍ୟ ସଫଳ କର। 6କାରଣ ଏବେ ହେଁ ମୋହର ପ୍ରାଣ ଆହୂତି ପରି ଢଳା ଯାଉଅଛି, ମୋହର ମହାପ୍ରୟାଣର ସମୟ ଉପସ୍ଥିତ। 7ମୁଁ ଉତ୍ତମ ଯୁଦ୍ଧରେ ପ୍ରାଣପଣ କରିଅଛି, ନିରୂପିତ ପଥର ଶେଷ ପର୍ଯ୍ୟନ୍ତ ଦୌଡ଼ିଅଛି, ମୁଁ ବିଶ୍ୱାସ ରକ୍ଷା କରିଅଛି; 8ବର୍ତ୍ତମାନ ମୋ ନିମନ୍ତେ ଧାର୍ମିକତାର ମୁକୁଟ ରଖାଯାଇଅଛି, ତାହା ସେହି ମହାଦିନରେ ନ୍ୟାୟବାନ୍ ବିଚାରକର୍ତ୍ତା ପ୍ରଭୁ ମୋତେ ଦେବେ, ପୁଣି, କେବଳ ମୋତେ ନୁହେଁ, ମାତ୍ର ଯେତେ ଲୋକ ତାହାଙ୍କ ଆଗମନକୁ ଆଗ୍ରହରେ ଅପେକ୍ଷା କରନ୍ତି, ସେ ସମସ୍ତଙ୍କୁ ଦେବେ।
ସୁସମାଚାର (ଈଶ୍ବରପ୍ରକାଶ ପୂର୍ବର ରବିବାର ପାଇଁ)
1ଈଶ୍ବରଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସୁସମାଚାରର ଆରମ୍ଭ। 2ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ରରେ ଯେପରି ଲେଖାଅଛି, “ଦେଖ, ଆମ୍ଭେ ଆପଣା ଦୂତକୁ ତୁମ୍ଭ ଆଗରେ ପ୍ରେରଣ କରୁଅଛୁ, ସେ ତୁମ୍ଭର ପଥ ପ୍ରସ୍ତୁତ କରିବ; 3ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ପ୍ରସ୍ତୁତ କର, ତାହାଙ୍କ ରାଜଦାଣ୍ଡ ସଳଖ କର।” 4ବାପ୍ତିଜକ ଯୋହନ ପ୍ରାନ୍ତରରେ ଉପସ୍ଥିତ ହୋଇ ପାପ କ୍ଷମା ନିମନ୍ତେ ମନ-ପରିବର୍ତ୍ତନର ବାପ୍ତିସ୍ମ ଘୋଷଣା କରିବାକୁ ଲାଗିଲେ। 5ସେଥିରେ ସମଗ୍ର ଯିହୂଦିୟା ପ୍ରଦେଶ ଓ ସମସ୍ତ ଯିରୂଶାଲମ ସହରନିବାସୀ ବାହାରି ତାହାଙ୍କ ନିକଟକୁ ଆସିବାକୁ ଲାଗିଲେ ଓ ଆପଣା ଆପଣା ପାପ ସ୍ୱୀକାର କରି ତାହାଙ୍କ ଦ୍ୱାରା ଯର୍ଦ୍ଦନ ନଦୀରେ ବାପ୍ତିଜିତ ହେଲେ। 6ଯୋହନ ଓଟ ଲୋମର ବସ୍ତ୍ର ପିନ୍ଧୁଥିଲେ ଓ ଆପଣା କଟିରେ ଚର୍ମପଟୁକା ବାନ୍ଧୁଥିଲେ, ପୁଣି, ପଙ୍ଗପାଳ ଓ ବନମଧୁ ଖାଉଥିଲେ। 7ସେ ଘୋଷଣା କରି କହିବାକୁ ଲାଗିଲେ, “ମୋʼଠାରୁ ଯେ ଅଧିକ ଶକ୍ତିମାନ, ସେ ମୋʼ ଉତ୍ତାରେ ଆସୁଅଛନ୍ତି; ମୁଁ ଅବନତ ହୋଇ ତାହାଙ୍କ ପାଦୁକାର ବନ୍ଧନ ଫିଟାଇବାକୁ ଯୋଗ୍ୟ ନୁହେଁ। 8ମୁଁ ତୁମ୍ଭମାନଙ୍କୁ ଜଳରେ ବାପ୍ତିସ୍ମ ଦେଲି, ମାତ୍ର ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମାରେ ବାପ୍ତିସ୍ମ ଦେବେ।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜାନୁଆରୀ 4 ନାଗରିକ ପଞ୍ଜିକାର ଜାନୁଆରୀ 17। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର