ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜାନୁଆରୀ 2027 › ଜାନୁଆରୀ 31
ଅର୍ଥୋଡକ୍ସ ପଞ୍ଜିକା · 18 ଜାନୁଆରୀ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 31 ଜାନୁଆରୀ 2027
ରବିବାର · ସ୍ୱର 2
ପର୍ବ ଓ ସନ୍ଥ
ପେଣ୍ଟିକଷ୍ଟ ପରେ 35ତମ ରବିବାର
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପ୍ରଭାତୀ ପ୍ରାର୍ଥନାର ଦ୍ୱିତୀୟ ସୁସମାଚାର
1ବିଶ୍ରାମବାର ବିତିଗଲା ଉତ୍ତାରେ ମଗ୍ଦଲୀନୀ ମରୀୟମ, ଯାକୁବଙ୍କ ମାତା ମରୀୟମ ଓ ଶଲୋମୀ ସୁଗନ୍ଧିଦ୍ରବ୍ୟ କିଣିଲେ, ଯେପରି ସେମାନେ ଯାଇ ତାହାଙ୍କୁ ମଖାଇଦେଇ ପାରନ୍ତି। 2ପୁଣି, ସପ୍ତାହର ପ୍ରଥମ ଦିବସର ଅତି ପ୍ରତ୍ୟୁଷରେ ସେମାନେ ସମାଧି ନିକଟକୁ ଗଲେ, ସେତେବେଳେ ସୂର୍ଯ୍ୟ ଉଠିଲା। 3ସେମାନେ ପରସ୍ପରକୁ କହୁଥିଲେ, କିଏ ଆମ୍ଭମାନଙ୍କ ପାଇଁ ସମାଧି-ଦ୍ୱାରରୁ ପଥରଟା ଗଡ଼ାଇଦେବ? କାରଣ ତାହା ଅତି ବୃହତ ଥିଲା। 4ଏପରି ସମୟରେ ସେମାନେ ଚାହିଁ ଦେଖିଲେ ଯେ, ପଥର ଗଡ଼ାଇ ଦିଆଯାଇଅଛି। 5ସେମାନେ ସମାଧି ମଧ୍ୟରେ ପ୍ରବେଶ କରି ଶୁକ୍ଳ ବସ୍ତ୍ର ପରିହିତ ଜଣେ ଯୁବାଙ୍କୁ ଦକ୍ଷିଣ ପାର୍ଶ୍ୱରେ ବସିଥିବା ଦେଖି ଅତିଶୟ ଆଶ୍ଚର୍ଯ୍ୟାନ୍ୱିତ ହେଲେ। 6ସେଥିରେ ସେ ସେମାନଙ୍କୁ କହିଲେ, ଭୟ କର ନାହିଁ; ତୁମ୍ଭେମାନେ କ୍ରୁଶରେ ହତ ନାଜରିତୀୟ ଯୀଶୁଙ୍କର ଅନ୍ୱେଷଣ କରୁଅଛ; ସେ ଉଠିଅଛନ୍ତି, ସେ ଏଠାରେ ନାହାନ୍ତି; ଦେଖ, ଏହି ସ୍ଥାନରେ ସେମାନେ ତାହାଙ୍କୁ ରଖିଥିଲେ। 7କିନ୍ତୁ ତୁମ୍ଭେମାନେ ଯାଇ ତାହାଙ୍କ ଶିଷ୍ୟମାନଙ୍କୁ ଓ ପିତରଙ୍କୁ କୁହ, ସେ ତୁମ୍ଭମାନଙ୍କ ଆଗେ ଗାଲିଲୀକୁ ଯାଉଅଛନ୍ତି; ଯୀଶୁ ତୁମ୍ଭମାନଙ୍କୁ ଯେପରି କହିଥିଲେ, ସେପରି ତୁମ୍ଭେମାନେ ତାହାଙ୍କୁ ସେଠାରେ ଦେଖିବ। 8ସେଥିରେ ସେମାନେ ବାହାରି ସମାଧି ନିକଟରୁ ପଳାଇଗଲେ, କାରଣ ସେମାନେ ଭୟରେ କମ୍ପୁଥିଲେ ଓ ଆଶ୍ଚର୍ଯ୍ୟ ହୋଇଥିଲେ, ପୁଣି, କାହାକୁ କିଛି କହିଲେ ନାହିଁ, ଯେଣୁ ସେମାନେ ଭୀତ ହୋଇଥିଲେ।
ପତ୍ର
12ଅତଏବ, ଈଶ୍ବରଙ୍କ ମନୋନୀତ ସାଧୁ ଓ ପ୍ରିୟ ଲୋକ ହୋଇ କୋମଳ ହୃଦୟ, ଦୟା, ନମ୍ରତା, ମୃଦୁତା ଓ ଦୀର୍ଘସହିଷ୍ଣୁତା ପରିଧାନ କର। 13ପରସ୍ପର ପ୍ରତି ସହନଶୀଳ ହୁଅ ଆଉ ଯଦି କାହାରି କାହାରି ବିରୁଦ୍ଧରେ କୌଣସି କଥା ଥାଏ, ତେବେ ଏକକୁ ଆରେକ କ୍ଷମା କର; ପ୍ରଭୁ ଯେପରି ତୁମ୍ଭମାନଙ୍କୁ କ୍ଷମା କରିଅଛନ୍ତି, ତୁମ୍ଭେମାନେ ମଧ୍ୟ ସେହିପରି କର। 14ଆଉ, ଏହି ସମସ୍ତ ଉପରେ ପ୍ରେମକୁ ପରିଧାନ କର, ଏହା ସିଦ୍ଧ ଅବସ୍ଥାର ବନ୍ଧନ ସ୍ୱରୂପ। 15ପୁଣି, ଖ୍ରୀଷ୍ଟଦତ୍ତ ଯେଉଁ ଶାନ୍ତି ଭୋଗ କରିବା ନିମନ୍ତେ ତୁମ୍ଭେମାନେ ଏକ ଶରୀର ସ୍ୱରୂପେ ଆହୂତ ହୋଇଅଛ, ତାହା ତୁମ୍ଭମାନଙ୍କ ହୃଦୟରେ ରାଜତ୍ୱ କରୁ; ପୁଣି, ତୁମ୍ଭେମାନେ ଧନ୍ୟବାଦ ଦିଅ। 16ଖ୍ରୀଷ୍ଟଙ୍କ ବାକ୍ୟ ପ୍ରଚୁରଭାବେ ତୁମ୍ଭମାନଙ୍କଠାରେ ବାସ କରୁ; ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଓ ଚେତନା ଦିଅ, ପୁଣି, ଈଶ୍ବରଙ୍କ ଉଦ୍ଦେଶ୍ୟରେ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା କୃତଜ୍ଞ ହୃଦୟରେ ଗାନ କର।
ପତ୍ର (ସନ୍ଥ ଆଥାନାସିୟସ୍ ଓ ସନ୍ଥ ସିରିଲଙ୍କ ପାଇଁ)
7ଯେଉଁମାନେ ତୁମ୍ଭମାନଙ୍କୁ ଈଶ୍ବରଙ୍କ ବାକ୍ୟ କହିଥିଲେ, ତୁମ୍ଭମାନଙ୍କ ଏପରି ନେତାମାନଙ୍କୁ ସ୍ମରଣ କର; ସେମାନଙ୍କ ଜୀବନଯାତ୍ରାର ଶେଷ ଗତି ପ୍ରତି ଦୃଷ୍ଟି ରଖି ସେମାନଙ୍କ ବିଶ୍ୱାସର ଅନୁକାରୀ ହୁଅ। 8ଯୀଶୁ ଖ୍ରୀଷ୍ଟ କାଲି, ଆଜି ଓ ଅନନ୍ତକାଳ ସମାନ ଅଟନ୍ତି। 9ବିବିଧ ଓ ବିପରୀତ ପ୍ରକାର ଶିକ୍ଷାରେ ବିଚଳିତ ନ ହୁଅ, କାରଣ ଖାଦ୍ୟପଦାର୍ଥ ଦ୍ୱାରା ନୁହେଁ, ମାତ୍ର ଅନୁଗ୍ରହ ଦ୍ୱାରା ହୃଦୟ ସ୍ଥିରୀକୃତ ହେବା ଭଲ; ଯେଉଁମାନେ ଖାଦ୍ୟଦ୍ରବ୍ୟ ପ୍ରଥା ପାଳନ କରନ୍ତି, ସେମାନଙ୍କର କିଛି ଲାଭ ହେବ ନାହିଁ। 10ଯେଉଁ ବେଦିର ସାମଗ୍ରୀ ତମ୍ବୁର ଉପାସକମାନଙ୍କର ଭୋଜନ କରିବା ନିମନ୍ତେ ଅଧିକାର ନାହିଁ, ଆମ୍ଭମାନଙ୍କର ଏପରି ଏକ ବେଦି ଅଛି। 11କାରଣ ଯେଉଁ ସବୁ ପଶୁର ରକ୍ତ ପାପାର୍ଥକ ବଳି ସ୍ୱରୂପେ ମହାଯାଜକଙ୍କ ଦ୍ୱାରା ମହାପବିତ୍ର ସ୍ଥାନକୁ ଅଣାଯାଏ, ସେହିସବୁ ପଶୁର ଶରୀର ଛାଉଣୀର ବାହାରେ ଦଗ୍ଧ ହୁଏ। 12ଏଥିସକାଶେ ଯୀଶୁ ମଧ୍ୟ ଆପଣା ରକ୍ତ ଦ୍ୱାରା ଯେପରି ଲୋକଙ୍କୁ ପବିତ୍ର କରନ୍ତି, ଏଥିପାଇଁ ନଗର ଦ୍ୱାରର ବାହାରେ ମୃତ୍ୟୁଭୋଗ କଲେ। 13ଅତଏବ, ଆସ, ଆମ୍ଭେମାନେ ତାହାଙ୍କ ପରି ନିନ୍ଦା ସହ୍ୟ କରି ଛାଉଣୀର ବାହାରେ ତାହାଙ୍କ ନିକଟକୁ ଯାଉ। 14କାରଣ ଏଠାରେ ଆମ୍ଭମାନଙ୍କର ଚିରସ୍ଥାୟୀ ନଗର ନାହିଁ, କିନ୍ତୁ ଆମ୍ଭେମାନେ ଭବିଷ୍ୟତରେ ଚିରସ୍ଥାୟୀ ନଗରର ଅନ୍ୱେଷଣ କରୁଅଛୁ। 15ଏଣୁ ଆସ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାରୂପ ବଳି, ଅର୍ଥାତ୍ ତାହାଙ୍କ ନାମ ସ୍ୱୀକାରକାରୀ ଓଷ୍ଠାଧରର ଫଳ ନିତ୍ୟ ଉତ୍ସର୍ଗ କରୁ। 16ପରୋପକାର ଓ ଦାନ କରିବାକୁ ପାସୋର ନାହିଁ, କାରଣ ଏହିପରି ବଳିରେ ଈଶ୍ବରଙ୍କର ପରମ ସନ୍ତୋଷ।
ସୁସମାଚାର
18ଜଣେ ଯିହୁଦୀ ଧର୍ମଗୁରୁ ତାହାଙ୍କୁ ପଚାରିଲେ, ହେ ସଦ୍ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କଅଣ କରିବି? 19ସେଥିରେ ଯୀଶୁ ତାହାଙ୍କୁ କହିଲେ, “ମୋତେ ସତ୍ ବୋଲି କାହିଁକି କହୁଅଛ? ଜଣଙ୍କ ବିନା, ଅର୍ଥାତ୍ ଈଶ୍ବରଙ୍କ ବିନା ଅନ୍ୟ କେହି ସତ୍ ନୁହେଁ। 20ଆଜ୍ଞାଗୁଡ଼ିକ ତ ତୁମ୍ଭେ ଜାଣ, ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ, ଆପଣା ପିତାମାତାଙ୍କୁ ସମାଦର କର।” 21ସେ କହିଲେ, ଏହି ସମସ୍ତ ମୁଁ ଯୌବନକାଳରୁ ପାଳନ କରି ଆସିଅଛି। 22ଯୀଶୁ ଏହା ଶୁଣି ତାହାଙ୍କୁ କହିଲେ, “ତୁମ୍ଭର ଆଉ ଗୋଟିଏ ବିଷୟ ଉଣା ଅଛି; ତୁମ୍ଭେ ନିଜର ସବୁ ବିକି ଦେଇ ଗରିବମାନଙ୍କୁ ବାଣ୍ଟିଦିଅ, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର।” 23କିନ୍ତୁ ସେ ଏହି ସମସ୍ତ କଥା ଶୁଣି ଅତ୍ୟନ୍ତ ଦୁଃଖିତ ହେଲେ, କାରଣ ସେ ଅତିଶୟ ଧନୀ ଥିଲେ। 24ସେଥିରେ ଯୀଶୁ ତାହାଙ୍କୁ ଦେଖି କହିଲେ, “ଯେଉଁମାନଙ୍କର ଧନ ଅଛି, ସେମାନେ କେଡ଼େ କଷ୍ଟରେ ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରନ୍ତି! 25କାରଣ ଈଶ୍ବରଙ୍କ ରାଜ୍ୟରେ ଧନୀ ଲୋକର ପ୍ରବେଶ କରିବା ଅପେକ୍ଷା ବରଂ ଛୁଞ୍ଚିର ଛିଦ୍ର ଦେଇ ଓଟର ପ୍ରବେଶ କରିବା ସହଜ।” 26ଯେଉଁମାନେ ଏହା ଶୁଣିଲେ, ସେମାନେ କହିଲେ, ତେବେ କିଏ ପରିତ୍ରାଣ ପାଇ ପାରେ? 27କିନ୍ତୁ ସେ କହିଲେ, “ଯାହା ମଣିଷର ଅସମ୍ଭବ, ତାହା ଈଶ୍ବରଙ୍କର ସମ୍ଭବ।”
ସୁସମାଚାର (ସନ୍ଥ ଆଥାନାସିୟସ୍ ଓ ସନ୍ଥ ସିରିଲଙ୍କ ପାଇଁ)
14ତୁମ୍ଭେମାନେ ଜଗତର ଜ୍ୟୋତିଃ। ପର୍ବତ ଉପରେ ସ୍ଥାପିତ ନଗର ଗୁପ୍ତ ହୋଇ ରହି ନ ପାରେ; 15କିବା ଲୋକମାନେ ଦୀପ ଜାଳି ମାଣ ତଳେ ରଖନ୍ତି ନାହିଁ, ମାତ୍ର ଦୀପରୁଖା ଉପରେ ରଖନ୍ତି, ସେଥିରେ ତାହା ଗୃହରେ ଥିବା ସମସ୍ତ ଲୋକକୁ ଆଲୋକ ଦିଏ। 16ସେପ୍ରକାରେ ତୁମ୍ଭମାନଙ୍କର ଆଲୋକ ଲୋକଙ୍କ ସାକ୍ଷାତରେ ପ୍ରକାଶ ପାଉ, ଯେପରି ସେମାନେ ତୁମ୍ଭମାନଙ୍କ ସତ୍କର୍ମ ଦେଖି ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କର ମହିମା କୀର୍ତ୍ତନ କରିବେ। 17ମୁଁ ଯେ ବ୍ୟବସ୍ଥା କି ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଲୋପ କରିବାକୁ ଆସିଅଛି, ଏପରି ଭାବ ନାହିଁ; ଲୋପ କରିବାକୁ ଆସି ନାହିଁ ବରଂ ସଫଳ କରିବାକୁ ଆସିଅଛି। 18କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେପର୍ଯ୍ୟନ୍ତ ଆକାଶମଣ୍ଡଳ ଓ ପୃଥିବୀ ଲୋପ ନ ପାଇବ, ସେପର୍ଯ୍ୟନ୍ତ ସମସ୍ତ ନ ଘଟିବା ଯାଏ ବ୍ୟବସ୍ଥାରୁ ଏକ ମାତ୍ରା କି ଏକ ବିନ୍ଦୁ କୌଣସି ପ୍ରକାରେ ଲୋପ ପାଇବ ନାହିଁ। 19ଅତଏବ ଯେ କେହି ଏହି ସମସ୍ତ କ୍ଷୁଦ୍ରତମ ଆଜ୍ଞା ମଧ୍ୟରୁ କୌଣସି ଗୋଟିଏ ଆଜ୍ଞା ଅମାନ୍ୟ କରେ ଓ ଲୋକଙ୍କୁ ସେହି ପ୍ରକାରେ ଶିକ୍ଷା ଦିଏ, ସେ ସ୍ୱର୍ଗରାଜ୍ୟରେ କ୍ଷୁଦ୍ରତମ ବୋଲି ପରିଚିତ ହେବ; କିନ୍ତୁ ଯେକେହି ସେହି ସମସ୍ତ ପାଳନ କରେ ଓ ଶିକ୍ଷା ଦିଏ, ସେ ସ୍ୱର୍ଗରାଜ୍ୟରେ ମହାନ ବୋଲି ପରିଚିତ ହେବ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜାନୁଆରୀ 18 ନାଗରିକ ପଞ୍ଜିକାର ଜାନୁଆରୀ 31। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର