ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଫେବୃଆରୀ 2027 › ଫେବୃଆରୀ 1
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 1 ଫେବୃଆରୀ 2027
ସୋମବାର · ସାଧାରଣ କାଳର ଚତୁର୍ଥ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର ଚତୁର୍ଥ ସପ୍ତାହର ସୋମବାର
ସାଧାରଣ ଦିନ · ଉପାସନାର ରଙ୍ଗ: ସବୁଜ
ଦିନର ପାଠ
ପ୍ରଥମ ପାଠ
32ଆଉ ଅଧିକ କଅଣ କହିବି? ଗିଦିୟୋନ, ବାରକ, ଶାମ୍ଶୋନ୍, ଯିପ୍ତହ, ଦାଉଦ, ଶାମୁୟେଲ ଓ ଭାବବାଦୀମାନଙ୍କ ବିଷୟ ଯଦି ମୁଁ ବର୍ଣ୍ଣନା କରେ, ତେବେ ସମୟ ଅଣ୍ଟିବ ନାହିଁ; 33ବିଶ୍ୱାସ ଦ୍ୱାରା ସେମାନେ ରାଜ୍ୟଗୁଡ଼ିକ ଜୟ କଲେ, ଧର୍ମ ସାଧନ କଲେ, ପ୍ରତିଜ୍ଞାର ଫଳପ୍ରାପ୍ତ ହେଲେ, ସିଂହମାନଙ୍କ ମୁଖରୁ ବଞ୍ଚିତ ହେଲେ, 34ଅଗ୍ନିର ତେଜ ନିବାରଣ କଲେ, ଖଡ୍ଗଧାରରୁ ରକ୍ଷା ପାଇଲେ, ଦୁର୍ବଳ ସମୟରେ ସବଳ ହେଲେ, ଯୁଦ୍ଧରେ ବିଜୟୀ ହେଲେ, ପୁଣି, ଅଣଯିହୁଦୀମାନଙ୍କର ସୈନ୍ୟମାନଙ୍କୁ ବିତାଡ଼ିତ କଲେ। 35ସ୍ତ୍ରୀଲୋକମାନେ ଆପଣା ଆପଣା ମୃତମାନଙ୍କୁ ପୁନରୁତ୍ଥାନ ଦ୍ୱାରା ପ୍ରାପ୍ତ ହେଲେ; ଅନ୍ୟମାନେ ଉତ୍କୃଷ୍ଟତର ପୁନରୁତ୍ଥାନ ପ୍ରାପ୍ତ ହେବା ନିମନ୍ତେ ଉଦ୍ଧାର ପାଇବାକୁ ଇଚ୍ଛା ନ କରି ମହାଯନ୍ତ୍ରଣା ଭୋଗ କଲେ। 36ଅନ୍ୟମାନେ ବିଦ୍ରୂପ, କୋରଡ଼ା ପ୍ରହାର, ହଁ, ବନ୍ଧନ ଓ କାରାବାସ ଦ୍ୱାରା ସୁଦ୍ଧା ପରୀକ୍ଷିତ ହେଲେ; 37କେହି ଅବା ପ୍ରସ୍ତରାଘାତରେ ହତ, କେହି ଅବା ନିର୍ଯ୍ୟାତିତ, କେହି କରତ ଦ୍ୱାରା ଦ୍ୱିଖଣ୍ଡିତ, ପୁଣି, କେହି ଅବା ଖଡ୍ଗ ଦ୍ୱାରା ନିହତ ହେଲେ, କେହି କେହି ମେଷ ଓ ଛାଗଳର ଚର୍ମରେ ଆଚ୍ଛାଦିତ, ଅଭାବଗ୍ରସ୍ତ, କ୍ଳିଷ୍ଟ ଓ ତାଡନାପ୍ରାପ୍ତ ହୋଇ 38ପ୍ରାନ୍ତର, ପର୍ବତ, ଗୁହା, ପୁଣି, ପୃଥିବୀର ଗହ୍ୱର ଭ୍ରମଣ କଲେ; ଜଗତ ସେମାନଙ୍କର ଯୋଗ୍ୟ ନ ଥିଲା। 39ବିଶ୍ୱାସ ଦ୍ୱାରା ଏହି ସମସ୍ତେ ସୁଖ୍ୟାତି ଲାଭ କରି ସୁଦ୍ଧା ପ୍ରତିଜ୍ଞାର ଫଳପ୍ରାପ୍ତ ହେଲେ ନାହିଁ, 40ଯେଣୁ ଈଶ୍ବର ଆମ୍ଭମାନଙ୍କ ନିମନ୍ତେ ଉତ୍କୃଷ୍ଟତର ବିଷୟ ପ୍ରସ୍ତୁତ କରି ରଖିଥିଲେ, ଯେପରି ସେମାନେ ଆମ୍ଭମାନଙ୍କ ବିନା ସିଦ୍ଧ ଲାଭ ନ କରନ୍ତି।
ପ୍ରତିଉତ୍ତର ଗୀତ
19ଆଃ, ତୁମ୍ଭେ ଆପଣା ଭୟକାରୀମାନଙ୍କ ପାଇଁ ଯେଉଁ ମଙ୍ଗଳ ସଞ୍ଚୟ କରିଅଛ, ମନୁଷ୍ୟ-ସନ୍ତାନଗଣ ସାକ୍ଷାତରେ ଆପଣା ଶରଣାଗତ ଲୋକଙ୍କ ପାଇଁ ଯେଉଁ ମଙ୍ଗଳ ସାଧନ କରିଅଛ, ତାହା କିପରି ମହତ୍! 20ତୁମ୍ଭେ ମନୁଷ୍ୟର ସବୁ କୁମନ୍ତ୍ରଣାରୁ ସେମାନଙ୍କୁ ଆପଣା ଶ୍ରୀଛାମୁର ଅନ୍ତରାଳରେ ଲୁଚାଇବ; ତୁମ୍ଭେ ଜିହ୍ୱାସମୂହର ବିରୋଧରୁ ସେମାନଙ୍କୁ ଆପଣା ଆବାସରେ ଗୋପନ କରି ରଖିବ। 21ସଦାପ୍ରଭୁ ଧନ୍ୟ ହେଉନ୍ତୁ; କାରଣ ସେ ଦୃଢ଼ ନଗରରେ ମୋʼ ପ୍ରତି ଆପଣାର ଆଶ୍ଚର୍ଯ୍ୟ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କରିଅଛନ୍ତି। 22ମାତ୍ର ମୁଁ ତୁମ୍ଭ ଦୃଷ୍ଟିରୁ ଉଚ୍ଛିନ୍ନ ବୋଲି ଆପଣା ଅଧୈର୍ଯ୍ୟରେ କହିଥିଲି; ତଥାପି ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ ତୁମ୍ଭେ ମୋʼ ନିବେଦନର ରବ ଶୁଣିଲ। 23ହେ ସଦାପ୍ରଭୁଙ୍କ ସଦ୍ଭକ୍ତ ସମସ୍ତେ, ତାହାଙ୍କୁ ପ୍ରେମ କର; ସଦାପ୍ରଭୁ ବିଶ୍ୱସ୍ତ ଲୋକମାନଙ୍କୁ ରକ୍ଷା କରନ୍ତି ଓ ଗର୍ବାଚାରୀମାନଙ୍କୁ ବହୁଳ ରୂପେ ପ୍ରତିଫଳ ଦିଅନ୍ତି।
ସୁସମାଚାର
1ପରେ ସେମାନେ ସମୁଦ୍ରର ଅପର ପାର୍ଶ୍ୱସ୍ଥ ଗରାଶୀୟମାନଙ୍କ ଅଞ୍ଚଳରେ ଉପସ୍ଥିତ ହେଲେ। 2ଯୀଶୁ ନୌକାରୁ ଓହ୍ଲାଇବା ମାତ୍ରେ ଜଣେ ଅଶୁଚି ଆତ୍ମାବିଷ୍ଟ ଲୋକ ସମାଧି-ସ୍ଥାନରୁ ବାହାରି ତାହାଙ୍କୁ ଭେଟିଲା। 3ସେ ସମାଧି-ସ୍ଥାନରେ ବାସ କରୁଥିଲା, ପୁଣି, କେହି ତାହାକୁ ଜଞ୍ଜିରରେ ସୁଦ୍ଧା ଆଉ ବାନ୍ଧି ପାରୁ ନ ଥିଲେ, 4କାରଣ ସେ ଅନେକ ଥର ବେଡ଼ି ଓ ଜଞ୍ଜିରରେ ବନ୍ଧା ହୋଇଥିଲା, କିନ୍ତୁ ସେ ଜଞ୍ଜିର ଛିଣ୍ଡାଇଦେଇ ବେଡ଼ିସବୁ ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାଇଥିଲା ଓ ତାହାକୁ ବଶରେ ରଖିବାକୁ କାହାର ବଳ ନ ଥିଲା। 5ସେ ଦିନରାତି ସବୁବେଳେ ସମାଧି-ସ୍ଥାନ ଓ ପର୍ବତରେ ରହି ଚିତ୍କାର କରୁଥିଲା, ପୁଣି, ପ୍ରସ୍ତରରେ ଆପଣାକୁ କ୍ଷତବିକ୍ଷତ କରୁଥିଲା। 6ସେ ଯୀଶୁଙ୍କୁ ଦୂରରୁ ଦେଖି ଦୌଡ଼ିଆସି ତାହାଙ୍କୁ ପ୍ରଣାମ କଲା, 7ଆଉ ଉଚ୍ଚସ୍ୱରରେ ଚିତ୍କାର କରି କହିଲା, ହେ ପରାତ୍ପର ଈଶ୍ବରଙ୍କ ପୁତ୍ର ଯୀଶୁ, ତୁମ୍ଭ ସାଙ୍ଗରେ ମୋହର କଅଣ ଅଛି? ତୁମ୍ଭକୁ ଈଶ୍ବରଙ୍କ ନାମରେ ଶପଥ ଦେଉଅଛି, ମୋତେ ଯନ୍ତ୍ରଣା ଦିଅ ନାହିଁ। 8କାରଣ ଯୀଶୁ ତାହାକୁ କହିବାକୁ ଯାଉଥିଲେ, “ରେ ଅଶୁଚି ଆତ୍ମା, ଏହି ଲୋକଠାରୁ ବାହାରିଯା।” 9ଆଉ ଯୀଶୁ ତାହାକୁ ପଚାରିଲେ, “ତୋର ନାଁ କଅଣ?” ସେ ତାହାକୁ କହିଲା, ମୋହର ନାଁ ବାହିନୀ, ଯେଣୁ ଆମେ ଅନେକ। 10ପୁଣି, ଯୀଶୁ ଯେପରି ସେମାନଙ୍କୁ ସେହି ଅଞ୍ଚଳରୁ ବାହାରକୁ ପଠାଇ ନ ଦିଅନ୍ତି, ସେଥିପାଇଁ ସେ ତାହାଙ୍କୁ ବହୁତ ବିନତି କଲା। 11ସେଠାରେ ପର୍ବତ କଡ଼ରେ ଗୋଟିଏ ଘୁଷୁରିପଲ ଚରୁଥିଲା। 12ଆଉ ସେମାନେ ତାହାଙ୍କୁ ବିନତି କରି କହିଲେ, ସେହି ଘୁଷୁରିମାନଙ୍କ ଭିତରେ ପଶିବା ପାଇଁ ଆମ୍ଭମାନଙ୍କୁ ସେମାନଙ୍କ ମଧ୍ୟକୁ ପଠାଅ। 13ସେ ସେମାନଙ୍କୁ ଅନୁମତି ଦିଅନ୍ତେ ଅଶୁଚି ଆତ୍ମାଗୁଡ଼ାକ ବାହାରି ଘୁଷୁରିମାନଙ୍କ ଭିତରେ ପଶିଲେ; ସେଥିରେ ସେହି ପଲ ଅତି ବେଗରେ ଦୌଡ଼ିଯାଇ ତୀଖସ୍ଥାନରୁ ସମୁଦ୍ରରେ ପଡ଼ି ବୁଡ଼ି ମଲେ। ଘୁଷୁରିମାନଙ୍କ ସଂଖ୍ୟା ପ୍ରାୟ ଦୁଇ ହଜାର ଥିଲା। 14ସେମାନଙ୍କୁ ଚରାଉଥିବା ଲୋକମାନେ ପଳାଇଯାଇ ନଗର ଓ ପଲ୍ଲୀଗୁଡ଼ିକରେ ତାହା ଜଣାଇଲେ; ସେଥିରେ ଲୋକେ କଅଣ ଘଟିଅଛି ବୋଲି ଦେଖିବାକୁ ଆସିଲେ। 15ପୁଣି, ସେମାନେ ଯୀଶୁଙ୍କ ନିକଟକୁ ଆସି ସେହି ଭୂତଗ୍ରସ୍ତ, ଅର୍ଥାତ୍ ଯାହାକୁ ପୂର୍ବରେ ବାହିନୀ ଭୂତ ଲାଗିଥିଲା, ତାହାକୁ ଲୁଗା ପିନ୍ଧି ଭଲ ମନରେ ବସିଥିବା ଦେଖି ଭୀତ ହେଲେ। 16ଆଉ ଯେଉଁମାନେ ଦେଖିଥିଲେ, ସେମାନେ ସେହି ଭୂତଗ୍ରସ୍ତ ପ୍ରତି କିପରି କଅଣ ଘଟିଥିଲା, ଓ ଘୁଷୁରିମାନଙ୍କ ବିଷୟ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ। 17ସେଥିରେ ସେମାନେ ସେମାନଙ୍କ ସୀମାରୁ ବାହାରିଯିବାକୁ ତାହାଙ୍କୁ ବିନତି କରିବାକୁ ଲାଗିଲେ। 18ପରେ ସେ ନୌକାରେ ଚଢ଼ିବା ସମୟରେ, ଯେଉଁ ଲୋକକୁ ପୂର୍ବରେ ଭୂତ ଲାଗିଥିଲା, ସେ ତାହାଙ୍କ ସାଙ୍ଗରେ ରହିବା ନିମନ୍ତେ ଥରକୁଥର ବିନତି କଲା। 19କିନ୍ତୁ ଯୀଶୁ ଅନୁମତି ନ ଦେଇ ତାହାକୁ କହିଲେ, “ତୁମ୍ଭର ଗୃହକୁ, ତୁମ୍ଭର ଆତ୍ମୀୟମାନଙ୍କ ନିକଟକୁ ଯାଅ, ପୁଣି, ପ୍ରଭୁ ତୁମ୍ଭ ନିମନ୍ତେ ଯେ ଯେ କର୍ମ କରିଅଛନ୍ତି ଓ ତୁମ୍ଭ ପ୍ରତି ଯେଉଁ ଦୟା ଦେଖାଇଅଛନ୍ତି, ସେହିସବୁ ସେମାନଙ୍କୁ ଜଣାଅ।” 20ତହିଁରେ ସେ ଚାଲିଯାଇ, ଯୀଶୁ ତାହା ନିମନ୍ତେ ଯେଉଁ ଯେଉଁ କର୍ମ କରିଥିଲେ, ସେହିସବୁ ଦେକାପଲିରେ ଘୋଷଣା କରିବାକୁ ଲାଗିଲେ; ସେଥିରେ ସମସ୍ତେ ଚମତ୍କୃତ ହେଲେ।
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର