ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଫେବୃଆରୀ 2027 › ଫେବୃଆରୀ 4
ଅର୍ଥୋଡକ୍ସ ପଞ୍ଜିକା · 22 ଜାନୁଆରୀ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 4 ଫେବୃଆରୀ 2027
ଗୁରୁବାର · ପେଣ୍ଟିକଷ୍ଟ ପରେ 36ତମ ସପ୍ତାହ · ସ୍ୱର 2
ପର୍ବ ଓ ସନ୍ଥ
Apostle Timothy of the Seventy († 96)
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
19ହେ ମୋହର ପ୍ରିୟ ଭାଇମାନେ, ତୁମ୍ଭେମାନେ ଏହା ଜ୍ଞାତ ଅଛ। ପ୍ରତ୍ୟେକ ଜଣ ଶୁଣିବାରେ ତତ୍ପର, କହିବାରେ ଧୀର ପୁଣି, କ୍ରୋଧ କରିବାରେ ଧୀର ହେଉ, 20କାରଣ ମନୁଷ୍ୟର କ୍ରୋଧ ଈଶ୍ବରଙ୍କ ଗ୍ରାହ୍ୟ ଧାର୍ମିକତା ସାଧନ କରେ ନାହିଁ। 21ଅତଏବ, ତୁମ୍ଭେମାନେ ସମସ୍ତ ଅଶୁଚିତା ଓ ସବୁପ୍ରକାର ଦୁଷ୍ଟତା ପରିତ୍ୟାଗ କରି ଯେଉଁ ରୋପିତ ବାକ୍ୟ ତୁମ୍ଭମାନଙ୍କ ଆତ୍ମାକୁ ପରିତ୍ରାଣ କରିବା ନିମନ୍ତେ ସମର୍ଥ, ତାହା ନମ୍ର ଭାବରେ ଗ୍ରହଣ କର। 22କିନ୍ତୁ ଶ୍ରୋତାମାତ୍ର ହୋଇ ଆପଣାମାନଙ୍କୁ ପ୍ରବଞ୍ଚନା ନ କରି ବାକ୍ୟର କର୍ମକାରୀ ହୁଅ। 23କାରଣ ଯଦି କେହି ବାକ୍ୟର କର୍ମକାରୀ ନ ହୋଇ ଶ୍ରୋତାମାତ୍ର ହୁଏ, ତେବେ ସେ ଦର୍ପଣରେ ଆପଣା ସ୍ୱାଭାବିକ ମୁଖ ଦର୍ଶନ କରୁଥିବା ମନୁଷ୍ୟର ତୁଲ୍ୟ, 24ଯେଣୁ ସେ ଆପଣାକୁ ଦେଖିଲା ଉତ୍ତାରେ ଚାଲିଯାଇ, ସେ କି ପ୍ରକାର ଲୋକ, ତାହା ସେହିକ୍ଷଣି ଭୁଲିଯାଏ। 25କିନ୍ତୁ ଯେ ସିଦ୍ଧ, ଅର୍ଥାତ୍, ସ୍ୱାଧୀନତାର ବ୍ୟବସ୍ଥା ପ୍ରତି ନିରୀକ୍ଷଣ କରି ସେଥିରେ ନିବିଷ୍ଟ ଥାଏ, ପୁଣି, ବିସ୍ମରଣକାରୀ ଶ୍ରୋତାମାତ୍ର ନ ହୋଇ ବରଂ କାର୍ଯ୍ୟକାରୀ ହୁଏ, ସେ ଆପଣା କାର୍ଯ୍ୟରେ ଧନ୍ୟ। 26ଯଦି କେହି ଆପଣାକୁ ଧର୍ମପରାୟଣ ବୋଲି ମନେ କରେ, ଆଉ ଆପଣା ଜିହ୍ୱାକୁ ବଶୀଭୂତ ନ କରି ନିଜ ହୃଦୟକୁ ପ୍ରବଞ୍ଚନା କରେ, ତାହାର ଧର୍ମପରାୟଣତା ବୃଥା। 27ଅନାଥ ଓ ବିଧବାମାନଙ୍କୁ ସେମାନଙ୍କ ଦୁଃଖାବସ୍ଥାରେ ସଂଖୋଳିବା ପୁଣି, ସଂସାରରୁ ଆପଣାକୁ ନିଷ୍କଳଙ୍କ ରୂପେ ରକ୍ଷା କରିବା, ଏହା ଆମ୍ଭମାନଙ୍କ ଈଶ୍ବର ଓ ପିତାଙ୍କ ଛାମୁରେ ବିଶୁଦ୍ଧ ଓ ନିର୍ମଳ ଧର୍ମପରାୟଣତା ଅଟେ।
ସୁସମାଚାର
17ସେ ପୁନର୍ବାର ଯାତ୍ରା ଆରମ୍ଭ କରିବା ସମୟରେ ଜଣେ ଦୌଡ଼ିଆସି ତାହାଙ୍କ ଛାମୁରେ ଆଣ୍ଠୁପାତି ତାହାଙ୍କୁ ପଚାରିଲେ, ହେ ସଦ୍ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କଅଣ କରିବି? 18ସେଥିରେ ଯୀଶୁ ତାହାଙ୍କୁ କହିଲେ, “ମୋତେ ଉତ୍ତମ ବୋଲି କାହିଁକି କହୁଅଛ? ଜଣଙ୍କ ବିନା, ଅର୍ଥାତ୍ ଈଶ୍ବରଙ୍କ ବିନା ଅନ୍ୟ କେହି ଉତ୍ତମ ନୁହେଁ। 19ଆଜ୍ଞାଗୁଡ଼ିକ ତ ତୁମ୍ଭେ ଜାଣ, ‘ନରହତ୍ୟା କର ନାହିଁ, ବ୍ୟଭିଚାର କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ, ପ୍ରବଞ୍ଚନା କର ନାହିଁ, ଆପଣା ପିତାମାତାଙ୍କୁ ସମାଦର କର।’” 20ସେ ତାହାଙ୍କୁ କହିଲେ, ହେ ଗୁରୁ, ଏହି ସମସ୍ତ ମୁଁ ଯୌବନକାଳରୁ ପାଳନ କରି ଆସିଅଛି। 21ଯୀଶୁ ତାହାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ତାହାଙ୍କୁ ସ୍ନେହ କଲେ ଓ କହିଲେ, “ତୁମ୍ଭର ଗୋଟିଏ ବିଷୟ ଊଣା ଅଛି, ତୁମ୍ଭେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ଦରିଦ୍ରମାନଙ୍କୁ ଦାନ କର, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର।” 22କିନ୍ତୁ ଏହି କଥାରେ ତାହାଙ୍କ ମୁଖ ମଳିନ ହୋଇଗଲା ଓ ସେ ଦୁଃଖିତ ହୋଇ ଚାଲିଗଲେ, କାରଣ ତାହାଙ୍କର ବହୁତ ସମ୍ପତ୍ତି ଥିଲା। 23ସେଥିରେ ଯୀଶୁ ଚତୁର୍ଦ୍ଦିଗକୁ ଦୃଷ୍ଟିପାତ କରି ଆପଣା ଶିଷ୍ୟମାନଙ୍କୁ କହିଲେ, “ଯେଉଁମାନଙ୍କର ଧନ ଅଛି, ସେମାନେ କେଡ଼େ କଷ୍ଟରେ ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବେ!” 24ତାହାଙ୍କ କଥା ଶୁଣି ଶିଷ୍ୟମାନେ ବିସ୍ମୟାନ୍ୱିତ ହେଲେ। କିନ୍ତୁ ଯୀଶୁ ପୁନର୍ବାର ସେମାନଙ୍କୁ ଉତ୍ତର ଦେଲେ, “ବତ୍ସଗଣ, ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବା କେଡ଼େ କଷ୍ଟକର! 25ଈଶ୍ବରଙ୍କ ରାଜ୍ୟରେ ଧନୀ ଲୋକର ପ୍ରବେଶ କରିବା ଅପେକ୍ଷା ବରଂ ଛୁଞ୍ଚିର ଛିଦ୍ର ଦେଇ ଓଟର ଯିବାର ସହଜ।” 26ଏଥିରେ ସେମାନେ ଅତିଶୟ ଆଶ୍ଚର୍ଯ୍ୟାନ୍ୱିତ ହୋଇ ପରସ୍ପରକୁ କହିଲେ, ତେବେ କିଏ ପରିତ୍ରାଣ ପାଇ ପାରେ? 27ଯୀଶୁ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, “ଏହା ମନୁଷ୍ୟ ନିମନ୍ତେ ଅସାଧ୍ୟ, କିନ୍ତୁ ଈଶ୍ବରଙ୍କ ନିମନ୍ତେ ନୁହେଁ; କାରଣ ଈଶ୍ବରଙ୍କ ନିମନ୍ତେ ସମସ୍ତ ସାଧ୍ୟ।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜାନୁଆରୀ 22 ନାଗରିକ ପଞ୍ଜିକାର ଫେବୃଆରୀ 4। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର