Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଫେବୃଆରୀ 2027 › ଫେବୃଆରୀ 5

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 5 ଫେବୃଆରୀ 2027

ଶୁକ୍ରବାର · ସାଧାରଣ କାଳର ଚତୁର୍ଥ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର ଚତୁର୍ଥ ସପ୍ତାହର ଶୁକ୍ରବାର

ସ୍ମୃତି ଦିବସ · ଉପାସନାର ରଙ୍ଗ: ନାଲି

ସନ୍ଥ ଆଗାଥା, କୁମାରୀ ଓ ଶହୀଦ · ସ୍ମୃତି ଦିବସ

ଉପବାସ ଓ ପ୍ରାୟଶ୍ଚିତ୍ତ

ପ୍ରାୟଶ୍ଚିତ୍ତର ଦିନ

ପ୍ରତ୍ୟେକ ଶୁକ୍ରବାର ପ୍ରାୟଶ୍ଚିତ୍ତର ଦିନ; ପ୍ରତ୍ୟେକ ବିଶପ୍ ସମ୍ମିଳନୀ ଏହା କିପରି ପାଳିବାକୁ ହେବ ସ୍ଥିର କରେ: ମାଂସରୁ ବିରତି କିମ୍ବା ପ୍ରାୟଶ୍ଚିତ୍ତର ଅନ୍ୟ କାର୍ଯ୍ୟ। ଉପବାସ 18ରୁ 59 ବର୍ଷ ପର୍ଯ୍ୟନ୍ତ, ବିରତି 14 ବର୍ଷରୁ ବାଧ୍ୟତାମୂଳକ।

ଦିନର ପାଠ

ପ୍ରଥମ ପାଠ

ଏବ୍ରୀ 13:1–8

1ବିଶ୍ୱାସୀମାନଙ୍କ ମଧ୍ୟରେ ପ୍ରେମ ସ୍ଥିର ହୋଇ ରହିଥାଉ। 2ଆତିଥ୍ୟସତ୍କାର ନ ପାସୋର, ଯେଣୁ ତଦ୍ୱାରା କେହି କେହି ଅଜ୍ଞାତସାରରେ ଦୂତମାନଙ୍କୁ ଆତିଥ୍ୟ କରିଅଛନ୍ତି। 3ଆପଣାମାନଙ୍କୁ ବନ୍ଦୀମାନଙ୍କ ସହବନ୍ଦୀ ସ୍ୱରୂପେ ଜ୍ଞାନ କରି ପୁଣି, ନିଜେ ଦେହଧାରୀ ଅଟ ବୋଲି ଜାଣି କ୍ଳେଶଭୋଗ କରୁଥିବା ଲୋକମାନଙ୍କୁ ସ୍ମରଣ କର। 4ବିବାହ ସମସ୍ତଙ୍କ ମଧ୍ୟରେ ଆଦରଣୀୟ ହେଉ ଓ ତାହାର ଶଯ୍ୟା ଶୁଚି ଥାଉ, କାରଣ ଈଶ୍ବର ପାରଦାରିକ ଓ ବ୍ୟଭିଚାରୀମାନଙ୍କ ବିଚାର କରିବେ। 5ଆଚାର-ବ୍ୟବହାରରେ ଧନଲୋଭ ଶୂନ୍ୟ ହୁଅ, ତୁମ୍ଭମାନଙ୍କର ଯାହା କିଛି ଅଛି, ସେଥିରେ ସନ୍ତୁଷ୍ଟ ଥାଅ, କାରଣ ସେ ନିଜେ କହିଅଛନ୍ତି, “ଆମ୍ଭେ ତୁମ୍ଭକୁ କେବେ ହେଁ ଛାଡ଼ିବା ନାହିଁ, ଆମ୍ଭେ ତୁମ୍ଭକୁ କେବେ ହେଁ ପରିତ୍ୟାଗ କରିବା ନାହିଁ।” 6ଅତଏବ ଆମ୍ଭେମାନେ ସାହସପୂର୍ବକ କହି ପାରୁ, “ପ୍ରଭୁ ମୋହର ସହାୟ, ମୁଁ ଭୟ କରିବି ନାହିଁ। ମନୁଷ୍ୟ ମୋହର କଅଣ କରିବ?” 7ଯେଉଁମାନେ ତୁମ୍ଭମାନଙ୍କୁ ଈଶ୍ବରଙ୍କ ବାକ୍ୟ କହିଥିଲେ, ତୁମ୍ଭମାନଙ୍କ ଏପରି ନେତାମାନଙ୍କୁ ସ୍ମରଣ କର; ସେମାନଙ୍କ ଜୀବନଯାତ୍ରାର ଶେଷ ଗତି ପ୍ରତି ଦୃଷ୍ଟି ରଖି ସେମାନଙ୍କ ବିଶ୍ୱାସର ଅନୁକାରୀ ହୁଅ। 8ଯୀଶୁ ଖ୍ରୀଷ୍ଟ କାଲି, ଆଜି ଓ ଅନନ୍ତକାଳ ସମାନ ଅଟନ୍ତି।

ପ୍ରତିଉତ୍ତର ଗୀତ

ଗୀତ 27:1, 3, 5, 8–9

1ଦାଉଦଙ୍କର ଗୀତ। ସଦାପ୍ରଭୁ ମୋହର ଦୀପ୍ତି ଓ ମୋହର ପରିତ୍ରାଣ; ମୁଁ କାହାକୁ ଭୟ କରିବି? ସଦାପ୍ରଭୁ ମୋʼ ଜୀବନର ବଳ; ମୁଁ କାହାଠାରୁ ଭୀତ ହେବି? 3ସୈନ୍ୟଦଳ ମୋʼ ବିରୁଦ୍ଧରେ ଛାଉଣି କଲେ ହେଁ ମୋହର ଅନ୍ତଃକରଣ ଭୟ କରିବ ନାହିଁ; ଯଦି ଯୁଦ୍ଧ ମୋʼ ବିରୁଦ୍ଧରେ ଉଠେ, ତେବେ ମଧ୍ୟ ମୁଁ ସାହସିକ ହେବି। 5କାରଣ ବିପଦ ଦିନରେ ସେ ଆପଣା ଆବାସରେ ମୋତେ ଗୋପନ କରି ରଖିବେ; ସେ ଆପଣା ତମ୍ବୁର ଅନ୍ତରାଳରେ ମୋତେ ଲୁଚାଇବେ; ସେ ମୋତେ ଶୈଳ ଉପରକୁ ଉଠାଇବେ। 8ଯେତେବେଳେ ତୁମ୍ଭେ କହିଲ, “ତୁମ୍ଭେମାନେ ମୋହର ମୁଖ ଅନ୍ୱେଷଣ କର,” ମୋʼ ଅନ୍ତଃକରଣ ତୁମ୍ଭଙ୍କୁ କହିଲା, “ସଦାପ୍ରଭୋ, ମୁଁ ତୁମ୍ଭର ମୁଖ ଅନ୍ୱେଷଣ କରିବି।” 9ମୋʼ ଠାରୁ ଆପଣା ମୁଖ ଲୁଚାଅ ନାହିଁ; କ୍ରୋଧରେ ଆପଣା ଦାସକୁ ଦୂର କର ନାହିଁ; ତୁମ୍ଭେ ମୋହର ସହାୟ ହୋଇଅଛ; ହେ ମୋʼ ପରିତ୍ରାଣର ପରମେଶ୍ୱର, ମୋତେ ଦୂର କର ନାହିଁ, କିଅବା ପରିତ୍ୟାଗ କର ନାହିଁ।

ସୁସମାଚାର

ମାର୍କ 6:14–29

14ତାହାଙ୍କ ନାମ ବିଖ୍ୟାତ ହେବାରୁ ହେରୋଦ ରାଜା ତାହାଙ୍କ ବିଷୟରେ ଶୁଣିଲେ, ଆଉ ଲୋକେ କହୁଥିଲେ, ବାପ୍ତିଜକ ଯୋହନ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ସେଥିସକାଶେ ଏହି ସମସ୍ତ ଶକ୍ତି ତାହାଙ୍କଠାରେ କାର୍ଯ୍ୟ କରୁଅଛି। 15କିନ୍ତୁ ଅନ୍ୟମାନେ କହୁଥିଲେ, ଏ ଏଲୀୟ; ପୁଣି, ଆଉ କେହି କହୁଥିଲେ, ଭାବବାଦୀମାନଙ୍କ ମଧ୍ୟରୁ କୌଣସି ଜଣକ ସଦୃଶ ଏ ଜଣେ ଭାବବାଦୀ। 16କିନ୍ତୁ ହେରୋଦ ଏହା ଶୁଣି କହିଲେ, ଯେଉଁ ଯୋହନଙ୍କ ମସ୍ତକ ଆମ୍ଭେ ଛେଦନ କରିଅଛୁ, ସେ ଉଠିଅଛନ୍ତି। 17ଯେଣୁ ହେରୋଦ ଆପଣା ଭାଇ ଫିଲିପ୍ପଙ୍କ ଭାର୍ଯ୍ୟା ହେରୋଦିଆଙ୍କୁ ବିବାହ କରିଥିବାରୁ ତାହାଙ୍କ ସକାଶେ ଆପେ ଲୋକ ପଠାଇ ଯୋହନଙ୍କୁ ଧରି ଓ ବାନ୍ଧି ବନ୍ଦୀଶାଳାରେ ପକାଇଥିଲେ। 18କାରଣ ଯୋହନ ହେରୋଦଙ୍କୁ କହୁଥିଲେ, ଆପଣା ଭାଇର ଭାର୍ଯ୍ୟାକୁ ରଖିବା ଆପଣଙ୍କର ବିଧିସଙ୍ଗତ ନୁହେଁ। 19ସେଥିରେ ହେରୋଦିଆ ତାହାଙ୍କ ପ୍ରତି ଈର୍ଷାନ୍ୱିତ ହୋଇ ତାହାଙ୍କୁ ବଧ କରିବା ନିମନ୍ତେ ଇଚ୍ଛା କରୁଥିଲେ, ମାତ୍ର ପାରୁ ନ ଥିଲେ; 20କାରଣ ହେରୋଦ ଯୋହନଙ୍କୁ ଜଣେ ଧାର୍ମିକ ଓ ପବିତ୍ର ବ୍ୟକ୍ତି ଜାଣି ଭୟ କରୁଥିଲେ ଆଉ ତାହାଙ୍କୁ ରକ୍ଷା କରିବାକୁ ଚେଷ୍ଟା କରୁଥିଲେ, ପୁଣି, ତାହାଙ୍କ କଥା ଶୁଣି ଅତିଶୟ ଉଦ୍‌ବିଗ୍ନ ହେଲେ ସୁଦ୍ଧା ଆନନ୍ଦରେ ତାହା ଶୁଣୁଥିଲେ। 21ପରେ ସୁଯୋଗର ଦିନ ଉପସ୍ଥିତ ହେଲା। ହେରୋଦ ଆପଣା ଜନ୍ମ ଦିନରେ ପାତ୍ର-ମନ୍ତ୍ରୀ, ପ୍ରଧାନ ପ୍ରଧାନ ସେନାପତି ଓ ଗାଲିଲୀର ବିଶିଷ୍ଟ ବ୍ୟକ୍ତିମାନଙ୍କ ନିମନ୍ତେ ରାତ୍ରି ସମୟରେ ଗୋଟିଏ ଭୋଜ ପ୍ରସ୍ତୁତ କଲେ; 22ଆଉ ହେରୋଦିଆଙ୍କ ନିଜର କନ୍ୟା ଭିତରକୁ ଆସି ନୃତ୍ୟ କରି ହେରୋଦ ଓ ତାହାଙ୍କ ସହିତ ଭୋଜରେ ଉପବିଷ୍ଟ ବ୍ୟକ୍ତିମାନଙ୍କୁ ମୁଗ୍ଧ କରିଦେଲା। ସେଥିରେ ରାଜା ବାଳିକାକୁ କହିଲେ, ଯାହା ଇଚ୍ଛା କରୁଅଛ, ମାଗ, ଆମ୍ଭେ ତୁମ୍ଭକୁ ତାହା ଦେବା। 23ପୁଣି, ସେ ତାହା ନିକଟରେ ଶପଥ କଲେ, ତୁମ୍ଭେ ଆମ୍ଭକୁ ଯାହା କିଛି ମାଗିବ, ରାଜ୍ୟର ଅର୍ଦ୍ଧେକ ପର୍ଯ୍ୟନ୍ତ ଆମ୍ଭେ ତୁମ୍ଭକୁ ଦେବା। 24ତହିଁରେ ସେ ବାହାରିଯାଇ ଆପଣା ମାତାଙ୍କୁ ପଚାରିଲା, ମୁଁ କଅଣ ମାଗିବି? ସେ କହିଲେ ବାପ୍ତିଜକ ଯୋହନର ମସ୍ତକ। 25ସେହିକ୍ଷଣି ସେ ରାଜାଙ୍କ ନିକଟକୁ ଶୀଘ୍ର ଆସି ଏହା କହି ମାଗିଲା, ମୋହର ଇଚ୍ଛା ଯେ, ଆପଣ ବାପ୍ତିଜକ ଯୋହନର ମସ୍ତକ ଗୋଟିଏ ଥାଳିରେ ମୋତେ ଏହିକ୍ଷଣି ଦିଅନ୍ତୁ। 26ଏଥିରେ ରାଜା ଅତ୍ୟନ୍ତ ଦୁଃଖିତ ହେଲେ ସୁଦ୍ଧା ଆପଣା ଶପଥ ଓ ଭୋଜନୋପବିଷ୍ଟ ବ୍ୟକ୍ତିମାନଙ୍କ ହେତୁ ମନା କରିବାକୁ ଇଚ୍ଛା କଲେ ନାହିଁ। 27ଏଣୁ ରାଜା ସେହିକ୍ଷଣି ଜଣେ ସୈନ୍ୟ ପଠାଇ ତାହାଙ୍କର ମସ୍ତକ ଆଣିବା ନିମନ୍ତେ ଆଜ୍ଞା ଦେଲେ। ସେଥିରେ ସେ ଯାଇ ବନ୍ଦୀଶାଳାରେ ତାହାଙ୍କ ମସ୍ତକ ଛେଦନ କଲା, 28ଆଉ ତାହା ଗୋଟିଏ ଥାଳିରେ ଆଣି ବାଳିକାକୁ ଦେଲା, ପୁଣି, ବାଳିକା ତାହା ଘେନି ନିଜ ମାତାଙ୍କୁ ଦେଲା। 29ତାହାଙ୍କ ଶିଷ୍ୟମାନେ ସେଥିର ସମ୍ବାଦ ପାଇ ଆସିଲେ ଓ ତାହାଙ୍କ ଶବ ଘେନିଯାଇ ସମାଧିରେ ରଖିଲେ।

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର