ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଫେବୃଆରୀ 2027 › ଫେବୃଆରୀ 7
ଅର୍ଥୋଡକ୍ସ ପଞ୍ଜିକା · 25 ଜାନୁଆରୀ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 7 ଫେବୃଆରୀ 2027
ରବିବାର · ସ୍ୱର 3
ପର୍ବ ଓ ସନ୍ଥ
ପେଣ୍ଟିକଷ୍ଟ ପରେ 36ତମ ରବିବାର
ରୁଷିଆର ନୂଆ ଶହୀଦ ଓ ବିଶ୍ୱାସ-ସ୍ୱୀକାରକାରୀ
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ସନ୍ଧ୍ୟା ପ୍ରାର୍ଥନା: ପାଠ
ହିତୋ 10 (ବଛାଯାଇଥିବା ପଦ)
ସନ୍ଧ୍ୟା ପ୍ରାର୍ଥନା: ପାଠ
ଏହି ଅନୁବାଦରେ ନାହିଁ
ପ୍ରଭାତୀ ପ୍ରାର୍ଥନାର ତୃତୀୟ ସୁସମାଚାର
9[ସପ୍ତାହର ପ୍ରଥମ ଦିବସ ପ୍ରତ୍ୟୁଷରେ ଯୀଶୁ ପୁନରୁତ୍ଥାନ କରି, ଯାହାଙ୍କଠାରୁ ସାତ ଭୂତ ଛଡ଼ାଇଥିଲେ, ସେହି ମଗ୍ଦଲୀନୀ ମରୀୟମଙ୍କୁ ପ୍ରଥମରେ ଦର୍ଶନ ଦେଲେ। 10ସେ ଯାଇ, ଯେଉଁମାନେ ତାହାଙ୍କ ସଙ୍ଗୀ ହୋଇଥିଲେ, ସେମାନଙ୍କୁ ସମ୍ବାଦ ଦେଲେ; ସେମାନେ ଶୋକ ଓ ରୋଦନ କରୁଥିଲେ। 11ଯୀଶୁ ଯେ ଜୀବିତ ଅଟନ୍ତି ଓ ତାହାଙ୍କୁ ଦର୍ଶନ ଦେଇଅଛନ୍ତି, ଏହା ଶୁଣି ସେମାନେ ବିଶ୍ୱାସ କଲେ ନାହିଁ। 12ଏହି ସମସ୍ତ ଘଟଣା ଉତ୍ତାରେ ସେମାନଙ୍କ ମଧ୍ୟରୁ ଦୁଇ ଜଣ ଗୋଟିଏ ପଲ୍ଲୀଗ୍ରାମକୁ ଯାଉଥିବା ସମୟରେ ସେ ଅନ୍ୟ ରୂପରେ ସେମାନଙ୍କୁ ଦର୍ଶନ ଦେଲେ, 13ପୁଣି, ସେମାନେ ଯାଇ ଅନ୍ୟମାନଙ୍କୁ ସମ୍ବାଦ ଦେଲେ; କିନ୍ତୁ ସେମାନଙ୍କ କଥା ସୁଦ୍ଧା ସେମାନେ ବିଶ୍ୱାସ କଲେ ନାହିଁ। 14ଏଥିଉତ୍ତାରେ ଏଗାର ଜଣ ଶିଷ୍ୟମାନେ ଭୋଜନରେ ବସିଥିବା ସମୟରେ ସେ ସେମାନଙ୍କୁ ଦର୍ଶନ ଦେଲେ ଏବଂ ସେମାନଙ୍କର ଅବିଶ୍ୱାସ ଓ ହୃଦୟର କଠିନତା ହେତୁ ସେମାନଙ୍କୁ ଅନୁଯୋଗ କଲେ, କାରଣ ଯେଉଁମାନେ ତାହାଙ୍କୁ ପୁନରୁତ୍ଥିତ ଦେଖିଲେ, ସେମାନଙ୍କ କଥା ସେମାନେ ବିଶ୍ୱାସ କରି ନ ଥିଲେ। 15ପୁଣି, ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସମୁଦାୟ ଜଗତକୁ ଯାଇ ସମସ୍ତ ମାନବଜାତି ନିକଟରେ ସୁସମାଚାର ଘୋଷଣା କର। 16ଯେ ବିଶ୍ୱାସ କରେ ଏବଂ ବାପ୍ତିଜିତ ହୁଏ, ସେ ପରିତ୍ରାଣ ପାଇବ; କିନ୍ତୁ ସେ ବିଶ୍ୱାସ କରେ ନାହିଁ, ସେ ଦଣ୍ଡାଜ୍ଞା ପାଇବ। 17ଆଉ ଏହିସବୁ ଚିହ୍ନ ସେମାନଙ୍କର ଅନୁବର୍ତ୍ତୀ ହେବ ଯେଉଁମାନେ ତାହାଙ୍କଠାରେ ବିଶ୍ୱାସ କରନ୍ତି, ସେମାନେ ମୋ ନାମରେ ଭୂତ ଛଡ଼ାଇବେ, ନୂତନ ନୂତନ ଭାଷାରେ କଥା କହିବେ, ହସ୍ତରେ ସର୍ପ ଧରିବେ, 18ପୁଣି, ପ୍ରାଣନାଶକ କୌଣସି ପଦାର୍ଥ ପାନ କଲେ ସେମାନଙ୍କର କିଛି କ୍ଷତି ହେବ ନାହିଁ; ସେମାନେ ପୀଡ଼ିତମାନଙ୍କ ଉପରେ ହସ୍ତ ଥୋଇଲେ ସେମାନେ ସୁସ୍ଥ ହେବେ।” 19ଏହି ରୂପେ ପ୍ରଭୁ ଯୀଶୁ ସେମାନଙ୍କୁ କଥା କହିବା ପରେ ସ୍ୱର୍ଗରେ ଗୃହୀତ ହୋଇ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ବସିଲେ। 20କିନ୍ତୁ ସେମାନେ ପ୍ରସ୍ଥାନ କରି ସର୍ବତ୍ର ପ୍ରଚାର କଲେ, ଆଉ ପ୍ରଭୁ ସେମାନଙ୍କର ସହକର୍ମୀ ହୋଇ ଅନୁବର୍ତ୍ତୀ ଚିହ୍ନଗୁଡ଼ିକ ଦ୍ୱାରା ସେହି ବାକ୍ୟ ପ୍ରମାଣସିଦ୍ଧ କଲେ।]
ପତ୍ର
15ପାପୀମାନଙ୍କୁ ପରିତ୍ରାଣ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁ ଯେ ଜଗତକୁ ଆସିଲେ; ଏହି ବାକ୍ୟ ବିଶ୍ୱାସଯୋଗ୍ୟ ଓ ସର୍ବତୋଭାବେ ଗ୍ରହଣ ଯୋଗ୍ୟ; ସେହି ପାପୀମାନଙ୍କ ମଧ୍ୟରେ ମୁଁ ପ୍ରଧାନ। 16ତଥାପି ଯେଉଁମାନେ ଭବିଷ୍ୟତ କାଳରେ ଅନନ୍ତ ଜୀବନ ପାଇବା ନିମନ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବେ, ସେମାନଙ୍କ ନିକଟରେ ଏକ ଉଦାହରଣ ହେବା ପାଇଁ ପ୍ରଧାନ ପାପୀ ଯେ ମୁଁ, ମୋʼଠାରେ ସେ ଯେପରି ଆପଣା ପୂର୍ଣ୍ଣ ଚିରସହିଷ୍ଣୁତା ପ୍ରକାଶ କରନ୍ତି, ଏଥିନିମନ୍ତେ ମୁଁ ଦୟା ପ୍ରାପ୍ତ ହେଲି। 17ଅକ୍ଷୟ, ଅଦୃଶ୍ୟ, ଅଦ୍ୱିତୀୟ ଈଶ୍ବର ଯେ ଅନନ୍ତକାଳୀନ ରାଜା, ତାହାଙ୍କ ସମ୍ଭ୍ରମ ଓ ଗୌରବ ଯୁଗେ ଯୁଗେ ହେଉ। ଆମେନ୍।
ପତ୍ର (ସନ୍ଥ ଗ୍ରେଗୋରୀଙ୍କ ପାଇଁ)
7କିନ୍ତୁ ପ୍ରତ୍ୟେକ ଜଣକୁ ଆତ୍ମାଙ୍କ ଗୁଣପ୍ରକାଶକ ଦାନ ସାଧାରଣ ହିତ ନିମନ୍ତେ ପ୍ରଦତ୍ତ ହୁଏ। 8କାରଣ ଜଣକୁ ଆତ୍ମାଙ୍କ ଦ୍ୱାରା ବୁଦ୍ଧିର ବାକ୍ୟ, ଅନ୍ୟ ଜଣକୁ ସେହି ଆତ୍ମାଙ୍କ ଶିକ୍ଷାନୁଯାୟୀ ଜ୍ଞାନର ବାକ୍ୟ, 9ଅପର ଜଣକୁ ସେହି ଆତ୍ମାଙ୍କ ଦ୍ୱାରା ବିଶ୍ୱାସ, ଆଉ ଜଣକୁ ସେହି ଏକ ଆତ୍ମାଙ୍କ ଦ୍ୱାରା ଆରୋଗ୍ୟ କରିବାର ଶକ୍ତି, 10ଅନ୍ୟ ଜଣକୁ ନାନା ଶକ୍ତିର କାର୍ଯ୍ୟ ସାଧନ କରିବାର, ଆଉ ଜଣକୁ ଭାବବାଣୀ କହିବାର, ଅନ୍ୟ ଜଣକୁ ଭିନ୍ନ ଭିନ୍ନ ଆତ୍ମା ଚିହ୍ନିବାର, ଆଉ ଜଣକୁ ବିଭିନ୍ନ ପରଭାଷା କହିବାର, ଅନ୍ୟ ଜଣକୁ ଭାଷାର ଅର୍ଥ କରିବାର ଶକ୍ତି ଦାନ କରାଯାଏ। 11କିନ୍ତୁ ସେ ଏକମାତ୍ର ଆତ୍ମା ଆପଣା ଇଚ୍ଛାନୁସାରେ ପ୍ରତ୍ୟେକ ଜଣକୁ ଭିନ୍ନ ଭିନ୍ନ ରୂପେ ଦାନ ବିତରଣ କରି ଏହି ସମସ୍ତ କର୍ମ ସାଧନ କରନ୍ତି।
ସୁସମାଚାର
35ସେ ଯିରୀହୋର ନିକଟବର୍ତ୍ତୀ ହେଉଥିବା ସମୟରେ ଜଣେ ଅନ୍ଧ ବାଟ ପାଖରେ ବସି ଭିକ ମାଗୁଥିଲା। 36ସେ ଲୋକମାନଙ୍କ ଯାଉଥିବାର ଶବ୍ଦ ଶୁଣି କଥା କଅଣ ବୋଲି ପଚାରିବାକୁ ଲାଗିଲା। 37ସେମାନେ ତାହାକୁ କହିଲେ, ନାଜରିତୀୟ ଯୀଶୁ ଏହି ବାଟ ଦେଇ ଯାଉଅଛନ୍ତି। 38ସେଥିରେ ସେ ଉଚ୍ଚସ୍ୱରରେ କହିଲେ, ହେ ଯୀଶୁ, ଦାଉଦଙ୍କ ସନ୍ତାନ, ମୋତେ ଦୟା କରନ୍ତୁ। 39ମାତ୍ର ଆଗରେ ଯାଉଥିବା ଲୋକମାନେ ତାହାଙ୍କୁ ତୁନି ହେବା ପାଇଁ ଧମକ ଦେବାକୁ ଲାଗିଲେ, କିନ୍ତୁ ସେ ଆହୁରି ଅଧିକ ଉଚ୍ଚସ୍ୱରରେ କହିବାକୁ ଲାଗିଲା, ହେ ଦାଉଦଙ୍କ ସନ୍ତାନ ମୋତେ ଦୟା କରନ୍ତୁ। 40ସେଥିରେ ଯୀଶୁ ଠିଆ ହୋଇ ଅନ୍ଧକୁ ଆପଣା ନିକଟକୁ ଆଣିବା ପାଇଁ ଆଦେଶ ଦେଲେ; ଯେତେବେଳେ ଅନ୍ଧଟି ପାଖକୁ ଆସିଲା, ଯୀଶୁ ତାହାକୁ ପଚାରିଲେ, 41“ମୁଁ ତୁମ୍ଭ ପାଇଁ କଅଣ କରିବି ବୋଲି ତୁମ୍ଭେ ଇଚ୍ଛା କରୁଅଛ?” ଅନ୍ଧ କହିଲା, ହେ ପ୍ରଭୁ, ମୁଁ ଯେପରି ଦେଖି ପାରିବି। 42ଯୀଶୁ ତାହାକୁ କହିଲେ, “ଦୃଷ୍ଟି ପାଅ; ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରିଅଛି।” 43ସେହିକ୍ଷଣି ସେ ଦେଖି ପାରିଲେ ଏବଂ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ କରୁ ତାହାଙ୍କ ପଛେ ପଛେ ଚାଲିବାକୁ ଲାଗିଲେ ଏବଂ ଲୋକ ସମସ୍ତେ ତାହା ଦେଖି ଈଶ୍ବରଙ୍କ ପ୍ରଶଂସା କଲେ।
ସୁସମାଚାର (ସନ୍ଥ ଗ୍ରେଗୋରୀଙ୍କ ପାଇଁ)
9ମୁଁ ଦ୍ୱାର, ଯଦି କେହି ମୋʼ ଦେଇ ପ୍ରବେଶ କରେ, ତାହାହେଲେ ସେ ରକ୍ଷା ପାଇବ ଏବଂ ଭିତରକୁ ଆସି ଓ ବାହାରକୁ ଯାଇ ଚରା ପାଇବ। 10ଚୋର କେବଳ ଚୋରି, ବଧ ଓ ବିନାଶ କରିବା ନିମନ୍ତେ ଆସେ; ସେମାନେ ଯେପରି ଜୀବନ ପାଆନ୍ତି ଓ ପ୍ରଚୁର ଭାବରେ ପାଆନ୍ତି, ଏଥିନିମନ୍ତେ ମୁଁ ଆସିଅଛି। 11ମୁଁ ଉତ୍ତମ ମେଷପାଳକ; ଉତ୍ତମ ମେଷପାଳକ ମେଷଗୁଡ଼ିକ ନିମନ୍ତେ ଆପଣା ପ୍ରାଣ ଦିଏ। 12ଯେ ମେଷପାଳକ ନୁହେଁ, ମାତ୍ର ମୂଲିଆ, ମେଷଗୁଡ଼ିକ ଯାହାର ନିଜର ନୁହଁନ୍ତି, ସେ ବାଘ ଆସିବା ଦେଖି ମେଷଗୁଡ଼ିକୁ ଛାଡ଼ି ପଳାଏ (ଆଉ ବାଘ ସେମାନଙ୍କୁ ଧରି ଛିନ୍ନଭିନ୍ନ କରେ), 13କାରଣ ସେ ମୂଲିଆ ଓ ମେଷଗୁଡ଼ିକ ନିମନ୍ତେ ଚିନ୍ତା କରେ ନାହିଁ। 14ମୁଁ ଉତ୍ତମ ମେଷପାଳକ। ପିତା ଯେପରି ମୋତେ ଜାଣନ୍ତି ଓ ମୁଁ ପିତାଙ୍କୁ ଜାଣେ, 15ସେହିପରି ମୁଁ ମୋʼ ନିଜର ମେଷଗୁଡ଼ିକୁ ଜାଣେ, ଆଉ ମୋʼ ନିଜର ମେଷଗୁଡ଼ିକ ମୋତେ ଜାଣନ୍ତି, ପୁଣି, ମେଷଗୁଡ଼ିକ ନିମନ୍ତେ ମୁଁ ମୋହର ପ୍ରାଣ ଦିଏ। 16ଯେଉଁ ମେଷଗୁଡ଼ିକ ଏହି ମେଷଶାଳାର ନୁହଁନ୍ତି, ମୋହର ଏପରି ଅନ୍ୟ ମେଷଗୁଡ଼ିକ ଅଛନ୍ତି, ସେମାନଙ୍କୁ ମଧ୍ୟ ମୋତେ ଆଣିବାକୁ ହେବ, ପୁଣି, ସେମାନେ ମୋହର ସ୍ୱର ଶୁଣିବେ; ସେଥିରେ ଗୋଟିଏ ପଲ ଓ ଗୋଟିଏ ପାଳକ ହେବେ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜାନୁଆରୀ 25 ନାଗରିକ ପଞ୍ଜିକାର ଫେବୃଆରୀ 7। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର