ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଫେବୃଆରୀ 2027 › ଫେବୃଆରୀ 8
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 8 ଫେବୃଆରୀ 2027
ସୋମବାର · ସାଧାରଣ କାଳର ପଞ୍ଚମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର ପଞ୍ଚମ ସପ୍ତାହର ସୋମବାର
ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ
ସନ୍ଥ ଜେରୋମ୍ ଏମିଲିଆନି, ପୁରୋହିତ · ଇଚ୍ଛାଧୀନ ସ୍ମୃତି ଦିବସ
ସନ୍ଥ ଜୋସେଫିନ୍ ବାଖିତା, କୁମାରୀ · ଇଚ୍ଛାଧୀନ ସ୍ମୃତି ଦିବସ
ଦିନର ପାଠ
ପ୍ରଥମ ପାଠ
1ଆଦ୍ୟରେ ପରମେଶ୍ୱର ସ୍ୱର୍ଗସମୂହ ଓ ପୃଥିବୀକୁ ସୃଷ୍ଟି କଲେ। 2ପୃଥିବୀ ନିର୍ଜନ ଓ ଶୂନ୍ୟ ଥିଲା, ଆଉ ଗଭୀର ଜଳ ଉପରେ ଅନ୍ଧକାର ଥିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ଜଳ ଉପରେ ବ୍ୟାପ୍ତ ଥିଲେ। 3ଏଥିଉତ୍ତାରେ ପରମେଶ୍ୱର କହିଲେ, “ଦୀପ୍ତି ହେଉ,” ତହିଁରେ ଦୀପ୍ତି ହେଲା। 4ଆଉ ପରମେଶ୍ୱର ଦୀପ୍ତିକୁ ଦେଖିଲେ ଯେ ତାହା ଉତ୍ତମ; ତହୁଁ ପରମେଶ୍ୱର ଅନ୍ଧକାରରୁ ଦୀପ୍ତିକୁ ଭିନ୍ନ କଲେ। 5ପୁଣି, ପରମେଶ୍ୱର ଦୀପ୍ତିର ନାମ “ଦିବସ,” ଓ ଅନ୍ଧକାରର ନାମ “ରାତ୍ରି” ଦେଲେ। ତହୁଁ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପ୍ରଥମ ଦିବସ ହେଲା। 6ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ମଧ୍ୟରେ ଶୂନ୍ୟ ଜାତ ହୋଇ ଜଳକୁ ଦୁଇ ଭାଗରେ ଭିନ୍ନ କରୁ।” 7ଏହିରୂପେ ପରମେଶ୍ୱର ଶୂନ୍ୟ ନିର୍ମାଣ କରି ଶୂନ୍ୟର ଊର୍ଦ୍ଧ୍ୱସ୍ଥ ଜଳରୁ ଶୂନ୍ୟର ଅଧଃସ୍ଥ ଜଳକୁ ଭିନ୍ନ କଲେ; ତହିଁରେ ସେହିରୂପ ହେଲା। 8ଆଉ ପରମେଶ୍ୱର ସେହି ଶୂନ୍ୟର ନାମ “ଆକାଶମଣ୍ଡଳ” ଦେଲେ। ପୁଣି, ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଦ୍ୱିତୀୟ ଦିବସ ହେଲା। 9ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆକାଶମଣ୍ଡଳର ଅଧଃସ୍ଥ ସମଗ୍ର ଜଳ ଏକ ସ୍ଥାନରେ ସଂଗୃହୀତ ହେଉ ଓ ସ୍ଥଳ ପ୍ରକାଶ ହେଉ,” ତହିଁରେ ସେହିରୂପ ହେଲା। 10ପୁଣି, ପରମେଶ୍ୱର ସ୍ଥଳର ନାମ “ପୃଥିବୀ,” ଓ ଜଳରାଶିର ନାମ “ସମୁଦ୍ର” ଦେଲେ; ଆଉ ପରମେଶ୍ୱର ତାହା ଉତ୍ତମ ଦେଖିଲେ। 11ଏଉତ୍ତାରୁ ପରମେଶ୍ୱର କହିଲେ, “ପୃଥିବୀ ତୃଣ ଓ ସବୀଜ ଶାକ ଓ ବୀଜ ସମ୍ବଳିତ ସ୍ୱ ସ୍ୱ ଜାତି ଅନୁଯାୟୀ ଫଳୋତ୍ପାଦକ ଫଳବୃକ୍ଷ ଭୂମି ଉପରେ ଉତ୍ପନ୍ନ କରୁ,” ତହିଁରେ ସେପରି ହେଲା। 12ଅର୍ଥାତ୍, ପୃଥିବୀ ତୃଣ ଓ ସ୍ୱ ସ୍ୱ ଜାତି ଅନୁସାରେ ବୀଜଉତ୍ପାଦକ ଶାକ ଓ ସ୍ୱ ସ୍ୱ ଜାତି ଅନୁସାରେ ସବୀଜ ଫଳୋତ୍ପାଦକ ବୃକ୍ଷ ଉତ୍ପନ୍ନ କଲା; ପୁଣି, ପରମେଶ୍ୱର ତାହା ଉତ୍ତମ ଦେଖିଲେ। 13ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ତୃତୀୟ ଦିବସ ହେଲା। 14ଏଥିଉତ୍ତାରେ ପରମେଶ୍ୱର କହିଲେ, “ରାତ୍ରିରୁ ଦିବସକୁ ପୃଥକ କରିବା ପାଇଁ ଆକାଶମଣ୍ଡଳରେ ଜ୍ୟୋତିର୍ଗଣ ଉତ୍ପନ୍ନ ହେଉନ୍ତୁ; ପୁଣି, ସେ ସବୁ ଚିହ୍ନ ଓ ଋତୁ ଓ ଦିବସ ଆଉ ବର୍ଷର କାରଣ ହେଉନ୍ତୁ। 15ଆଉ ପୃଥିବୀରେ ଆଲୁଅ ଦେବା ପାଇଁ ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ଥାଉନ୍ତୁ,” ତହିଁରେ ସେପରି ହେଲା। 16ଏହି ପ୍ରକାରେ ପରମେଶ୍ୱର ଦିବସରେ କର୍ତ୍ତୃତ୍ଵ କରିବାକୁ ଏକ ମହାଜ୍ୟୋତି ଓ ରାତ୍ରିରେ କର୍ତ୍ତୃତ୍ଵ କରିବାକୁ ତାହାଠାରୁ ସାନ ଏକ ଜ୍ୟୋତିଃ, ଏହି ଦୁଇ ମହାଜ୍ୟୋତି, ଆଉ ମଧ୍ୟ ତାରାଗଣ ନିର୍ମାଣ କଲେ। 17ତହୁଁ ପୃଥିବୀରେ ଦୀପ୍ତି ଦେବା ପାଇଁ ଓ ଦିବା ଓ ରାତ୍ରି ଉପରେ କର୍ତ୍ତୃତ୍ୱ କରିବା ପାଇଁ, 18ଆଉ ଦୀପ୍ତିକୁ ଅନ୍ଧକାରରୁ ପୃଥକ କରିବା ପାଇଁ, ପରମେଶ୍ୱର ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ସ୍ଥାପନ କଲେ; ଆଉ ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ। 19ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଚତୁର୍ଥ ଦିବସ ହେଲା।
ପ୍ରତିଉତ୍ତର ଗୀତ
ଗୀତ 104:1–2, 5–6, 10–12, 24, 35
1ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର। ହେ ସଦାପ୍ରଭୋ, ମୋʼ ପରମେଶ୍ୱର, ତୁମ୍ଭେ ଅତି ମହାନ; ତୁମ୍ଭେ ସମ୍ଭ୍ରମ ଓ ଐଶ୍ୱର୍ଯ୍ୟରେ ବିଭୂଷିତ। 2ତୁମ୍ଭେ ବସ୍ତ୍ର ପରି ଦୀପ୍ତି ପରିଧାନ କରିଅଛ; ତୁମ୍ଭେ ଚନ୍ଦ୍ରାତପ ପରି ଆକାଶମଣ୍ଡଳ ବିସ୍ତାର କରିଅଛ। 5ତୁମ୍ଭେ ପୃଥିବୀର ମୂଳ ଏପରି ସ୍ଥାପନ କରିଅଛ ଯେ, ତାହା କଦାପି ବିଚଳିତ ହେବ ନାହିଁ। 6ତୁମ୍ଭେ ତାହାକୁ ବସ୍ତ୍ର ପରି ବାରିଧିରେ ଆଚ୍ଛାଦନ କଲ; ପର୍ବତଗଣ ଉପରେ ଜଳରାଶି ଠିଆ ହେଲା। 10ସେ ଉପତ୍ୟକାସମୂହରେ ନିର୍ଝର ବୁହାନ୍ତି; ତାହା ପର୍ବତଗଣ ମଧ୍ୟରେ ଧାଏଁ; 11ତାହା କ୍ଷେତ୍ରସ୍ଥ ପଶୁଗଣକୁ ଜଳ ଯୋଗାଏ, ବନ୍ୟ ଗର୍ଦ୍ଦଭମାନେ ତହିଁରେ ଆପଣା ଆପଣା ତୃଷା ନିବାରଣ କରନ୍ତି। 12ତହିଁ ନିକଟରେ ଖେଚର ପକ୍ଷୀଗଣ ବସା କରନ୍ତି, ସେମାନେ ଡାଳ ମଧ୍ୟରେ ଗାନ କରନ୍ତି। 24ହେ ସଦାପ୍ରଭୋ, ତୁମ୍ଭର କାର୍ଯ୍ୟସକଳ କିପରି ବହୁବିଧ! ତୁମ୍ଭେ ଜ୍ଞାନରେ ସେସବୁ ନିର୍ମାଣ କରିଅଛ; ପୃଥିବୀ ତୁମ୍ଭ ସମ୍ପତ୍ତିରେ ପରିପୂର୍ଣ୍ଣ। 35ପାପୀଗଣ ପୃଥିବୀରୁ ଉଚ୍ଛିନ୍ନ ହେଉନ୍ତୁ ଓ ଦୁଷ୍ଟମାନେ ଆଉ ନ ଥାଉନ୍ତୁ। ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର। ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।
ସୁସମାଚାର
53ସେମାନେ ପାର ହୋଇ ଗିନ୍ନେସରତ ଅଞ୍ଚଳରେ ପହଞ୍ଚି କୂଳରେ ନୌକା ବାନ୍ଧିଲେ। 54ଆଉ ସେମାନେ ନୌକାରୁ ଓହ୍ଲାନ୍ତେ ଲୋକମାନେ ସେହିକ୍ଷଣି ତାହାଙ୍କୁ ଚିହ୍ନି, 55ସେହି ସମସ୍ତ ଅଞ୍ଚଳର ଚାରିଆଡ଼େ ଦୌଡ଼ିଗଲେ, ପୁଣି, ସେ ଯେଉଁ ଯେଉଁ ସ୍ଥାନରେ ଅଛନ୍ତି ବୋଲି ଶୁଣିଲେ, ସେହି ସେହି ସ୍ଥାନକୁ ପୀଡ଼ିତ ଲୋକମାନଙ୍କୁ ଖଟିଆରେ ବହି ଆଣିବାକୁ ଲାଗିଲେ। 56ପୁଣି, ସେ ଯେଉଁ ଯେଉଁ ଗ୍ରାମ, ନଗର ବା ପଲ୍ଲୀରେ ପ୍ରବେଶ କଲେ, ଲୋକେ ସେହିସବୁ ସ୍ଥାନର ହାଟବଜାର-ମାନଙ୍କରେ ରୋଗୀମାନଙ୍କୁ ଥୋଇଦେଇ, ସେମାନେ ଯେପରି ତାହାଙ୍କ ବସ୍ତ୍ରର ଝୁମ୍ପା ଛୁଅନ୍ତି, ଏହା ତାହାଙ୍କୁ ବିନତି କରିବାକୁ ଲାଗିଲେ; ଆଉ ଯେତେ ଲୋକ ତାହାଙ୍କୁ ଛୁଇଁଲେ, ସମସ୍ତେ ସୁସ୍ଥ ହେଲେ।
ଆଜିର ସନ୍ଥ
- ସନ୍ଥ ଜେରୋମ୍ ଏମିଲିଆନି, ପୁରୋହିତ
- ସନ୍ଥ ଜୋସେଫିନ୍ ବାଖିତା, କୁମାରୀ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର