ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଫେବୃଆରୀ 2027 › ଫେବୃଆରୀ 12
ଅର୍ଥୋଡକ୍ସ ପଞ୍ଜିକା · 30 ଜାନୁଆରୀ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 12 ଫେବୃଆରୀ 2027
ଶୁକ୍ରବାର · ପେଣ୍ଟିକଷ୍ଟ ପରେ 37ତମ ସପ୍ତାହ · ସ୍ୱର 3
ପର୍ବ ଓ ସନ୍ଥ
Synaxis of the “Three Hierarchs”—Basil the Great, Gregory the Theologian, and John Chrysostom (Transferred from Wednesday)
ଉପବାସ ଦିନ
ମାଛ ଚଳିବ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ସନ୍ଧ୍ୟା ପ୍ରାର୍ଥନା: ପାଠ
8ଦେଖ, ଆମ୍ଭେ ତୁମ୍ଭମାନଙ୍କ ଆଗରେ ଏହି ଦେଶ ସମର୍ପଣ କରିଅଛୁ; ସଦାପ୍ରଭୁ ତୁମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମଙ୍କୁ ଓ ଇସ୍ହାକକୁ ଓ ଯାକୁବକୁ ଓ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଥିଲେ, ତୁମ୍ଭେମାନେ ସେହି ଦେଶକୁ ଯାଇ ତାହା ଅଧିକାର କର।’” 9ପୁଣି ସେସମୟରେ ମୁଁ ତୁମ୍ଭମାନଙ୍କୁ କହିଲି, “ମୁଁ ଏକାକୀ ତୁମ୍ଭମାନଙ୍କ ଭାର ବହିବାକୁ ଅସମର୍ଥ; 10ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ବୃଦ୍ଧି କରିଅଛନ୍ତି, ଏଣୁ ଦେଖ, ତୁମ୍ଭେମାନେ ଆଜି ଆକାଶର ତାରାଗଣ ତୁଲ୍ୟ ବହୁସଂଖ୍ୟକ ହୋଇଅଛ। 11ତୁମ୍ଭେମାନେ ଏବେ ଯେତେ ଅଛ, ସଦାପ୍ରଭୁ ତୁମ୍ଭମାନଙ୍କ ପୈତୃକ ପରମେଶ୍ୱର ତୁମ୍ଭମାନଙ୍କୁ ତହିଁର ସହସ୍ର ଗୁଣ କରନ୍ତୁ ଓ ସେ ଯେରୂପ ତୁମ୍ଭମାନଙ୍କୁ ପ୍ରତିଜ୍ଞା କରିଅଛନ୍ତି, ତଦ୍ରୂପ ତୁମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ। 15ତହୁଁ ମୁଁ ତୁମ୍ଭମାନଙ୍କ ବଂଶ ଅନୁସାରେ ପ୍ରଧାନ, ଜ୍ଞାନୀ ଓ ବିଖ୍ୟାତ ଲୋକମାନଙ୍କୁ ନେଇ ତୁମ୍ଭମାନଙ୍କ ବଂଶାନୁସାରେ ତୁମ୍ଭମାନଙ୍କ ଉପରେ ପ୍ରଧାନ, ସହସ୍ରପତି, ଶତପତି, ପଚାଶପତି, ଦଶପତି ଓ ଅଧ୍ୟକ୍ଷମାନଙ୍କୁ ନିଯୁକ୍ତ କଲି। 16ପୁଣି ମୁଁ ସେସମୟରେ ତୁମ୍ଭମାନଙ୍କର ବିଚାରକର୍ତ୍ତୃଗଣକୁ ଆଜ୍ଞା ଦେଇ କହିଲି, “ତୁମ୍ଭେମାନେ ଆପଣା ଆପଣା ଭାଇମାନଙ୍କ ମଧ୍ୟରେ ବିବାଦ ଶୁଣ, ପୁଣି ମନୁଷ୍ୟ ଓ ତାହାର ଭାଇ ଓ ତାହାର ସହବାସୀ ବିଦେଶୀ ମଧ୍ୟରେ ଯଥାର୍ଥ ବିଚାର କର। 17ତୁମ୍ଭେମାନେ ବିଚାରରେ କାହାରି ମୁଖାପେକ୍ଷା କରିବ ନାହିଁ; ତୁମ୍ଭେମାନେ ସାନ ଓ ବଡ଼ ଲୋକର କଥା ସମଭାବରେ ଶୁଣିବ; ତୁମ୍ଭେମାନେ ମନୁଷ୍ୟର ମୁଖକୁ ଭୟ କରିବ ନାହିଁ; କାରଣ ବିଚାର ପରମେଶ୍ୱରଙ୍କର ଅଟେ; ପୁଣି ଯେଉଁ କଥା ତୁମ୍ଭମାନଙ୍କ ପ୍ରତି କଠିନ ହୁଏ, ତାହା ତୁମ୍ଭେମାନେ ମୋʼ ନିକଟକୁ ଆଣିବ, ମୁଁ ତାହା ଶୁଣିବି।”
ସନ୍ଧ୍ୟା ପ୍ରାର୍ଥନା: ପାଠ
14ଦେଖ, ଆକାଶମଣ୍ଡଳ ଓ ତହିଁ ଉପରିସ୍ଥ ସ୍ୱର୍ଗ, ପୁଣି ପୃଥିବୀ ଓ ତହିଁ ମଧ୍ୟସ୍ଥିତ ସମସ୍ତ ବସ୍ତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଅଟେ। 15କେବଳ ତୁମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ସ୍ନେହ କରିବାକୁ ସଦାପ୍ରଭୁଙ୍କର ସନ୍ତୋଷ ଥିବାରୁ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆଜି ଦିନ ପରି ସେ ସର୍ବଗୋଷ୍ଠୀୟ ଲୋକମାନଙ୍କଠାରୁ ମନୋନୀତ କଲେ। 16ଏଥିପାଇଁ ତୁମ୍ଭେମାନେ ଆପଣା ଆପଣା ହୃଦୟର ଅଗ୍ରଚର୍ମ ସୁନ୍ନତ କର, ଆଉ ଶକ୍ତଗ୍ରୀବ ହୁଅ ନାହିଁ। 17କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ସେ ଦେବଗଣର ଦେବ, ପ୍ରଭୁମାନଙ୍କର ପ୍ରଭୁ, ମହାନ, ସର୍ବଶକ୍ତିମାନ ଓ ଭୟଙ୍କର ପରମେଶ୍ୱର ଅଟନ୍ତି, ସେ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, କିଅବା ଲାଞ୍ଚ ଗ୍ରହଣ କରନ୍ତି ନାହିଁ। 18ସେ ପିତୃହୀନ, ବିଧବାର ବିଚାର ନିଷ୍ପତ୍ତି କରନ୍ତି ଓ ବିଦେଶୀକୁ ଅନ୍ନ ଓ ବସ୍ତ୍ର ଦେଇ ପ୍ରେମ କରନ୍ତି। 19ଏଥିପାଇଁ ତୁମ୍ଭେମାନେ ବିଦେଶୀକୁ ପ୍ରେମ କର, କାରଣ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ। 20ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଭୟ କରିବ; ତାହାଙ୍କର ତୁମ୍ଭେ ସେବା କରିବ ଓ ତାହାଙ୍କଠାରେ ତୁମ୍ଭେ ଆସକ୍ତ ହେବ, ପୁଣି ତାହାଙ୍କ ନାମରେ ତୁମ୍ଭେ ଶପଥ କରିବ। 21ସେ ତୁମ୍ଭର ପ୍ରଶଂସାର ଯୋଗ୍ୟ, ପୁଣି ସେ ତୁମ୍ଭର ପରମେଶ୍ୱର ଅଟନ୍ତି, ତୁମ୍ଭର ଚକ୍ଷୁ ଯାହା ଯାହା ଦେଖିଅଛି, ସେହି ସବୁ ମହତ୍ ଓ ଭୟଙ୍କର କର୍ମ ସେ ତୁମ୍ଭ ନିମନ୍ତେ କରିଅଛନ୍ତି।
ସନ୍ଧ୍ୟା ପ୍ରାର୍ଥନା: ପାଠ
ଏହି ଅନୁବାଦରେ ନାହିଁ
ପ୍ରଭାତୀ ପ୍ରାର୍ଥନା: ସୁସମାଚାର
9ମୁଁ ଦ୍ୱାର, ଯଦି କେହି ମୋʼ ଦେଇ ପ୍ରବେଶ କରେ, ତାହାହେଲେ ସେ ରକ୍ଷା ପାଇବ ଏବଂ ଭିତରକୁ ଆସି ଓ ବାହାରକୁ ଯାଇ ଚରା ପାଇବ। 10ଚୋର କେବଳ ଚୋରି, ବଧ ଓ ବିନାଶ କରିବା ନିମନ୍ତେ ଆସେ; ସେମାନେ ଯେପରି ଜୀବନ ପାଆନ୍ତି ଓ ପ୍ରଚୁର ଭାବରେ ପାଆନ୍ତି, ଏଥିନିମନ୍ତେ ମୁଁ ଆସିଅଛି। 11ମୁଁ ଉତ୍ତମ ମେଷପାଳକ; ଉତ୍ତମ ମେଷପାଳକ ମେଷଗୁଡ଼ିକ ନିମନ୍ତେ ଆପଣା ପ୍ରାଣ ଦିଏ। 12ଯେ ମେଷପାଳକ ନୁହେଁ, ମାତ୍ର ମୂଲିଆ, ମେଷଗୁଡ଼ିକ ଯାହାର ନିଜର ନୁହଁନ୍ତି, ସେ ବାଘ ଆସିବା ଦେଖି ମେଷଗୁଡ଼ିକୁ ଛାଡ଼ି ପଳାଏ (ଆଉ ବାଘ ସେମାନଙ୍କୁ ଧରି ଛିନ୍ନଭିନ୍ନ କରେ), 13କାରଣ ସେ ମୂଲିଆ ଓ ମେଷଗୁଡ଼ିକ ନିମନ୍ତେ ଚିନ୍ତା କରେ ନାହିଁ। 14ମୁଁ ଉତ୍ତମ ମେଷପାଳକ। ପିତା ଯେପରି ମୋତେ ଜାଣନ୍ତି ଓ ମୁଁ ପିତାଙ୍କୁ ଜାଣେ, 15ସେହିପରି ମୁଁ ମୋʼ ନିଜର ମେଷଗୁଡ଼ିକୁ ଜାଣେ, ଆଉ ମୋʼ ନିଜର ମେଷଗୁଡ଼ିକ ମୋତେ ଜାଣନ୍ତି, ପୁଣି, ମେଷଗୁଡ଼ିକ ନିମନ୍ତେ ମୁଁ ମୋହର ପ୍ରାଣ ଦିଏ। 16ଯେଉଁ ମେଷଗୁଡ଼ିକ ଏହି ମେଷଶାଳାର ନୁହଁନ୍ତି, ମୋହର ଏପରି ଅନ୍ୟ ମେଷଗୁଡ଼ିକ ଅଛନ୍ତି, ସେମାନଙ୍କୁ ମଧ୍ୟ ମୋତେ ଆଣିବାକୁ ହେବ, ପୁଣି, ସେମାନେ ମୋହର ସ୍ୱର ଶୁଣିବେ; ସେଥିରେ ଗୋଟିଏ ପଲ ଓ ଗୋଟିଏ ପାଳକ ହେବେ।
ପତ୍ର (ଧର୍ମାଧ୍ୟକ୍ଷମାନଙ୍କ ପାଇଁ)
7ଯେଉଁମାନେ ତୁମ୍ଭମାନଙ୍କୁ ଈଶ୍ବରଙ୍କ ବାକ୍ୟ କହିଥିଲେ, ତୁମ୍ଭମାନଙ୍କ ଏପରି ନେତାମାନଙ୍କୁ ସ୍ମରଣ କର; ସେମାନଙ୍କ ଜୀବନଯାତ୍ରାର ଶେଷ ଗତି ପ୍ରତି ଦୃଷ୍ଟି ରଖି ସେମାନଙ୍କ ବିଶ୍ୱାସର ଅନୁକାରୀ ହୁଅ। 8ଯୀଶୁ ଖ୍ରୀଷ୍ଟ କାଲି, ଆଜି ଓ ଅନନ୍ତକାଳ ସମାନ ଅଟନ୍ତି। 9ବିବିଧ ଓ ବିପରୀତ ପ୍ରକାର ଶିକ୍ଷାରେ ବିଚଳିତ ନ ହୁଅ, କାରଣ ଖାଦ୍ୟପଦାର୍ଥ ଦ୍ୱାରା ନୁହେଁ, ମାତ୍ର ଅନୁଗ୍ରହ ଦ୍ୱାରା ହୃଦୟ ସ୍ଥିରୀକୃତ ହେବା ଭଲ; ଯେଉଁମାନେ ଖାଦ୍ୟଦ୍ରବ୍ୟ ପ୍ରଥା ପାଳନ କରନ୍ତି, ସେମାନଙ୍କର କିଛି ଲାଭ ହେବ ନାହିଁ। 10ଯେଉଁ ବେଦିର ସାମଗ୍ରୀ ତମ୍ବୁର ଉପାସକମାନଙ୍କର ଭୋଜନ କରିବା ନିମନ୍ତେ ଅଧିକାର ନାହିଁ, ଆମ୍ଭମାନଙ୍କର ଏପରି ଏକ ବେଦି ଅଛି। 11କାରଣ ଯେଉଁ ସବୁ ପଶୁର ରକ୍ତ ପାପାର୍ଥକ ବଳି ସ୍ୱରୂପେ ମହାଯାଜକଙ୍କ ଦ୍ୱାରା ମହାପବିତ୍ର ସ୍ଥାନକୁ ଅଣାଯାଏ, ସେହିସବୁ ପଶୁର ଶରୀର ଛାଉଣୀର ବାହାରେ ଦଗ୍ଧ ହୁଏ। 12ଏଥିସକାଶେ ଯୀଶୁ ମଧ୍ୟ ଆପଣା ରକ୍ତ ଦ୍ୱାରା ଯେପରି ଲୋକଙ୍କୁ ପବିତ୍ର କରନ୍ତି, ଏଥିପାଇଁ ନଗର ଦ୍ୱାରର ବାହାରେ ମୃତ୍ୟୁଭୋଗ କଲେ। 13ଅତଏବ, ଆସ, ଆମ୍ଭେମାନେ ତାହାଙ୍କ ପରି ନିନ୍ଦା ସହ୍ୟ କରି ଛାଉଣୀର ବାହାରେ ତାହାଙ୍କ ନିକଟକୁ ଯାଉ। 14କାରଣ ଏଠାରେ ଆମ୍ଭମାନଙ୍କର ଚିରସ୍ଥାୟୀ ନଗର ନାହିଁ, କିନ୍ତୁ ଆମ୍ଭେମାନେ ଭବିଷ୍ୟତରେ ଚିରସ୍ଥାୟୀ ନଗରର ଅନ୍ୱେଷଣ କରୁଅଛୁ। 15ଏଣୁ ଆସ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାରୂପ ବଳି, ଅର୍ଥାତ୍ ତାହାଙ୍କ ନାମ ସ୍ୱୀକାରକାରୀ ଓଷ୍ଠାଧରର ଫଳ ନିତ୍ୟ ଉତ୍ସର୍ଗ କରୁ। 16ପରୋପକାର ଓ ଦାନ କରିବାକୁ ପାସୋର ନାହିଁ, କାରଣ ଏହିପରି ବଳିରେ ଈଶ୍ବରଙ୍କର ପରମ ସନ୍ତୋଷ।
ସୁସମାଚାର (ଧର୍ମାଧ୍ୟକ୍ଷମାନଙ୍କ ପାଇଁ)
14ତୁମ୍ଭେମାନେ ଜଗତର ଜ୍ୟୋତିଃ। ପର୍ବତ ଉପରେ ସ୍ଥାପିତ ନଗର ଗୁପ୍ତ ହୋଇ ରହି ନ ପାରେ; 15କିବା ଲୋକମାନେ ଦୀପ ଜାଳି ମାଣ ତଳେ ରଖନ୍ତି ନାହିଁ, ମାତ୍ର ଦୀପରୁଖା ଉପରେ ରଖନ୍ତି, ସେଥିରେ ତାହା ଗୃହରେ ଥିବା ସମସ୍ତ ଲୋକକୁ ଆଲୋକ ଦିଏ। 16ସେପ୍ରକାରେ ତୁମ୍ଭମାନଙ୍କର ଆଲୋକ ଲୋକଙ୍କ ସାକ୍ଷାତରେ ପ୍ରକାଶ ପାଉ, ଯେପରି ସେମାନେ ତୁମ୍ଭମାନଙ୍କ ସତ୍କର୍ମ ଦେଖି ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କର ମହିମା କୀର୍ତ୍ତନ କରିବେ। 17ମୁଁ ଯେ ବ୍ୟବସ୍ଥା କି ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଲୋପ କରିବାକୁ ଆସିଅଛି, ଏପରି ଭାବ ନାହିଁ; ଲୋପ କରିବାକୁ ଆସି ନାହିଁ ବରଂ ସଫଳ କରିବାକୁ ଆସିଅଛି। 18କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେପର୍ଯ୍ୟନ୍ତ ଆକାଶମଣ୍ଡଳ ଓ ପୃଥିବୀ ଲୋପ ନ ପାଇବ, ସେପର୍ଯ୍ୟନ୍ତ ସମସ୍ତ ନ ଘଟିବା ଯାଏ ବ୍ୟବସ୍ଥାରୁ ଏକ ମାତ୍ରା କି ଏକ ବିନ୍ଦୁ କୌଣସି ପ୍ରକାରେ ଲୋପ ପାଇବ ନାହିଁ। 19ଅତଏବ ଯେ କେହି ଏହି ସମସ୍ତ କ୍ଷୁଦ୍ରତମ ଆଜ୍ଞା ମଧ୍ୟରୁ କୌଣସି ଗୋଟିଏ ଆଜ୍ଞା ଅମାନ୍ୟ କରେ ଓ ଲୋକଙ୍କୁ ସେହି ପ୍ରକାରେ ଶିକ୍ଷା ଦିଏ, ସେ ସ୍ୱର୍ଗରାଜ୍ୟରେ କ୍ଷୁଦ୍ରତମ ବୋଲି ପରିଚିତ ହେବ; କିନ୍ତୁ ଯେକେହି ସେହି ସମସ୍ତ ପାଳନ କରେ ଓ ଶିକ୍ଷା ଦିଏ, ସେ ସ୍ୱର୍ଗରାଜ୍ୟରେ ମହାନ ବୋଲି ପରିଚିତ ହେବ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜାନୁଆରୀ 30 ନାଗରିକ ପଞ୍ଜିକାର ଫେବୃଆରୀ 12। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର