ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଫେବୃଆରୀ 2027 › ଫେବୃଆରୀ 14
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 14 ଫେବୃଆରୀ 2027
ରବିବାର · ଉପବାସ କାଳର ପ୍ରଥମ ସପ୍ତାହ
ପର୍ବ ଓ ସନ୍ଥ
ଉପବାସ କାଳର ପ୍ରଥମ ରବିବାର
ରବିବାର · ଉପାସନାର ରଙ୍ଗ: ବାଇଗଣୀ
ଦିନର ପାଠ
ପ୍ରଥମ ପାଠ
8ଏଥିଉତ୍ତାରେ ପରମେଶ୍ୱର ନୋହଙ୍କୁ ଓ ତାଙ୍କର ସଙ୍ଗୀ ପୁତ୍ରମାନଙ୍କୁ କହିଲେ, 9“ଦେଖ, ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ଭବିଷ୍ୟତ ବଂଶ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ଜୀବଜନ୍ତୁ ସହିତ, 10ଅର୍ଥାତ୍, ଜାହାଜରୁ ବହିର୍ଗତ ଗ୍ରାମ୍ୟ ଓ ବନ୍ୟ ପଶୁ ଓ ପକ୍ଷୀ ପ୍ରଭୃତି ପୃଥିବୀସ୍ଥ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଆପଣା ନିୟମ ସ୍ଥିର କରୁଅଛୁ। 11ଆମ୍ଭେ ତୁମ୍ଭମାନଙ୍କ ସହିତ ଏହି ନିୟମ ସ୍ଥିର କରିବୁ, ସମସ୍ତ ପ୍ରାଣୀ ଜଳପ୍ଳାବନ ଦ୍ୱାରା ଆଉ ଉଚ୍ଛିନ୍ନ ହେବେ ନାହିଁ; ପୁଣି, ପୃଥିବୀକୁ ବିନାଶ କରିବା ପାଇଁ ଆଉ ଜଳପ୍ଳାବନ ହେବ ନାହିଁ।” 12ପୁନଶ୍ଚ, ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ପ୍ରାଣୀବର୍ଗ ସହିତ ପୁରୁଷାନୁକ୍ରମେ ଅନନ୍ତକାଳ ପର୍ଯ୍ୟନ୍ତ ଯେଉଁ ନିୟମ ସ୍ଥିର କଲୁ, ତହିଁର ଚିହ୍ନ ଏହି; 13ଆମ୍ଭେ ମେଘରେ ଆପଣା ଧନୁ ସ୍ଥାପନ କରୁଅଛୁ, ତାହା ପୃଥିବୀ ସହିତ ଆମ୍ଭ ନିୟମର ଚିହ୍ନ ହେବ। 14ଯେତେବେଳେ ଆମ୍ଭେ ପୃଥିବୀ ଉପରେ ମେଘ ସଞ୍ଚାର କରିବା, ସେତେବେଳେ ସେହି ଧନୁ ମେଘରେ ଦେଖାଯିବ; 15ତହିଁରେ ତୁମ୍ଭମାନଙ୍କ ସହିତ ଓ ମାଂସବିଶିଷ୍ଟ ସମୁଦାୟ ପ୍ରାଣୀ ସହିତ ଆମ୍ଭର ଯେଉଁ ନିୟମ ଅଛି, ତାହା ଆମ୍ଭର ସ୍ମରଣ ହେବ, ତହିଁରେ ସବୁ ପ୍ରାଣୀର ବିନାଶାର୍ଥେ ଜଳପ୍ଳାବନ ଆଉ ହେବ ନାହିଁ।
ପ୍ରତିଉତ୍ତର ଗୀତ
4ହେ ସଦାପ୍ରଭୋ, ତୁମ୍ଭର ପଥସବୁ ମୋତେ ଦେଖାଅ; ତୁମ୍ଭର ମାର୍ଗସବୁ ମୋତେ ଶିଖାଅ। 5ତୁମ୍ଭ ସତ୍ୟତାରେ ମୋତେ କଢ଼ାଇ ନିଅ ଓ ମୋତେ ଶିକ୍ଷା ଦିଅ; କାରଣ ତୁମ୍ଭେ ମୋʼ ପରିତ୍ରାଣର ପରମେଶ୍ୱର ଅଟ; ମୁଁ ସାରାଦିନ ତୁମ୍ଭର ଅନୁସରଣ କରେ। 6ହେ ସଦାପ୍ରଭୋ, ତୁମ୍ଭର ଦୟା ଓ ସ୍ନେହପୂର୍ଣ୍ଣ କରୁଣା ସ୍ମରଣ କର। କାରଣ ତାହା ଅନାଦିକାଳୀନ। 7ମୋʼ ଯୌବନ କାଳର ପାପ ଓ ଅଧର୍ମସବୁ ସ୍ମରଣ କର ନାହିଁ; ହେ ସଦାପ୍ରଭୋ, ତୁମ୍ଭେ ଆପଣାର ମଙ୍ଗଳଭାବ ସକାଶୁ ନିଜ ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋତେ ସ୍ମରଣ କର। 8ସଦାପ୍ରଭୁ ମଙ୍ଗଳମୟ ଓ ସରଳ ଅଟନ୍ତି; ଏହେତୁ ସେ ପାପୀମାନଙ୍କୁ ପଥ ବିଷୟରେ ଶିକ୍ଷା ଦେବେ। 9ସେ ନମ୍ର ଲୋକକୁ ବିଚାର ମାର୍ଗରେ କଢ଼ାଇ ନେବେ ଓ ନମ୍ର ଲୋକକୁ ଆପଣା ପଥ ଶିଖାଇବେ।
ଦ୍ୱିତୀୟ ପାଠ
18ଯେଣୁ ଆମ୍ଭମାନଙ୍କୁ ଈଶ୍ବରଙ୍କ ନିକଟକୁ ଆଣିବା ପାଇଁ ଖ୍ରୀଷ୍ଟ ମଧ୍ୟ ଧାର୍ମିକ ହୋଇ ଅଧାର୍ମିକମାନଙ୍କ ନିମନ୍ତେ ପାପ ହେତୁ ଥରେ ମୃତ୍ୟୁଭୋଗ କଲେ। ସେ ଶରୀରରେ ମୃତ୍ୟୁଭୋଗ କଲେ ସତ, କିନ୍ତୁ ଆତ୍ମାରେ ଜୀବିତ ହେଲେ; 19ସେଥିରେ ମଧ୍ୟ ସେ ବନ୍ଦୀ ଆତ୍ମାମାନଙ୍କ ନିକଟକୁ ଯାଇ ପ୍ରଚାର କଲେ; 20ପୂର୍ବକାଳରେ ନୋହଙ୍କ ସମୟରେ ଜାହାଜ ନିର୍ମିତ ହେଉଥିବା ବେଳେ, ଯେତେବେଳେ ଈଶ୍ବର ଦୀର୍ଘସହିଷ୍ଣୁ ହୋଇ ଅପେକ୍ଷା କରୁଥିଲେ, ସେହି ସମୟରେ ସେମାନେ ଅବାଧ୍ୟ ହୋଇଥିଲେ। ସେହି ଜାହାଜରେ ପ୍ରବେଶ କରି ଅଳ୍ପ ଲୋକ, ଅର୍ଥାତ୍ ଆଠ ପ୍ରାଣୀ, ଜଳ ମଧ୍ୟ ଦେଇ ରକ୍ଷା ପାଇଲେ; 21ସେଥିର ପ୍ରତିରୂପ ବାପ୍ତିସ୍ମ ଅର୍ଥାତ୍ ଶରୀରର ମଳିନତା ଦୂରୀକରଣ ନୁହେଁ, କିନ୍ତୁ ଈଶ୍ବରଙ୍କ ନିକଟରେ ଶୁଚି ବିବେକ ପାଇବା ନିମନ୍ତେ ପ୍ରାର୍ଥନା, ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଏବେ ତୁମ୍ଭମାନଙ୍କୁ ପରିତ୍ରାଣ କରୁଅଛି; 22ସେହି ଯୀଶୁ ଖ୍ରୀଷ୍ଟ ସ୍ୱର୍ଗାରୋହଣ କରି ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଅଛନ୍ତି, ଆଉ ଦୂତମାନେ, କ୍ଷମତାବାନ ଓ ଶକ୍ତିଶାଳୀମାନେ ତାହାଙ୍କ ବଶୀଭୂତ ହୋଇଅଛନ୍ତି।
ସୁସମାଚାର
12ସେହିକ୍ଷଣି ପବିତ୍ର ଆତ୍ମା ତାହାଙ୍କୁ ପ୍ରାନ୍ତରକୁ ଘେନିଗଲେ। 13ଯୀଶୁ ପ୍ରାନ୍ତରରେ ଚାଳିଶ ଦିନ ରହି ଶୟତାନ ଦ୍ୱାରା ପରୀକ୍ଷିତ ହେଉଥିବା ସମୟରେ, ସେ ବନ୍ୟ-ପଶୁମାନଙ୍କ ସହିତ ରହିଲେ, ପୁଣି, ଦୂତମାନେ ତାହାଙ୍କ ସେବା କରୁଥିଲେ। 14ଯୋହନ କାରାରୁଦ୍ଧ ହେଲା ପରେ ଯୀଶୁ ଗାଲିଲୀକୁ ଆସି ଈଶ୍ବରଙ୍କ ସୁସମାଚାର ଘୋଷଣା କରି କହିବାକୁ ଲାଗିଲେ, 15“କାଳ ସମ୍ପୂର୍ଣ୍ଣ ହେଲାଣି, ଈଶ୍ବରଙ୍କ ରାଜ୍ୟ ସନ୍ନିକଟ; ମନ-ପରିବର୍ତ୍ତନ କର ଓ ସୁସମାଚାରରେ ବିଶ୍ୱାସ କର।”
ଆଜିର ସନ୍ଥ
- ସନ୍ଥ ସିରିଲ, ମଠବାସୀ, ଓ ସନ୍ଥ ମେଥୋଡିୟସ୍, ଧର୍ମାଧ୍ୟକ୍ଷ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର