ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଫେବୃଆରୀ 2027 › ଫେବୃଆରୀ 14
ଅର୍ଥୋଡକ୍ସ ପଞ୍ଜିକା · 1 ଫେବୃଆରୀ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 14 ଫେବୃଆରୀ 2027
ରବିବାର · ସ୍ୱର 4
ପର୍ବ ଓ ସନ୍ଥ
ଜଖୀୟଙ୍କ ରବିବାର
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପ୍ରଭାତୀ ପ୍ରାର୍ଥନାର ଚତୁର୍ଥ ସୁସମାଚାର
1ଆଉ ବିଶ୍ରାମବାର ଦିନରେ ସେମାନେ ବିଧି ଅନୁସାରେ ବିଶ୍ରାମ କଲେ, କିନ୍ତୁ ସପ୍ତାହର ପ୍ରଥମ ଦିନର ଅତି ପ୍ରତ୍ୟୁଷରେ ସେମାନେ ସେମାନଙ୍କ ପ୍ରସ୍ତୁତ ସୁଗନ୍ଧିଦ୍ରବ୍ୟ ଘେନି ସମାଧି-ସ୍ଥାନ ନିକଟକୁ ଗଲେ। 2ପୁଣି, ସେମାନେ ସମାଧିରୁ ପଥରଟା ଗଡ଼ାଇ ଦିଆଯାଇଥିବା ଦେଖିଲେ, 3କିନ୍ତୁ ଭିତରକୁ ଯାଇ ପ୍ରଭୁ ଯୀଶୁଙ୍କ ଶରୀର ପାଇଲେ ନାହିଁ। 4ଆଉ, ସେମାନେ ସେ ସମ୍ବନ୍ଧରେ ହତବୁଦ୍ଧି ହେଉଅଛନ୍ତି, ଏପରି ସମୟରେ ଦେଖ, ଉଜ୍ଜ୍ୱଳବସ୍ତ୍ର ପରିହିତ ଦୁଇ ଜଣ ବ୍ୟକ୍ତି ସେମାନଙ୍କ ନିକଟରେ ଉପସ୍ଥିତ ହେଲେ; 5ସେଥିରେ ସେମାନେ ଭୀତ ହୋଇ ଅଧୋମୁଖ ହୁଅନ୍ତେ ସେମାନେ ସେମାନଙ୍କୁ କହିଲେ, ମୃତମାନଙ୍କ ମଧ୍ୟରେ ତୁମ୍ଭେମାନେ କାହିଁକି ଜୀବିତଙ୍କର ଅନ୍ୱେଷଣ କରୁଅଛ? 6ସେ ଏଠାରେ ନାହାନ୍ତି, ମାତ୍ର ଉଠିଅଛନ୍ତି। “ମନୁଷ୍ୟପୁତ୍ରଙ୍କୁ ଯେ ଅବଶ୍ୟ ପାପୀମାନଙ୍କ ହସ୍ତରେ ସମର୍ପିତ ହୋଇ କ୍ରୁଶରେ ହତ ହେବାକୁ ଓ ତୃତୀୟ ଦିବସରେ ପୁନରୁତ୍ଥାନ କରିବାକୁ ହେବ,” 7ଏହି ଯେଉଁ ବାକ୍ୟ ସେ ଗାଲିଲୀରେ ଥିବା ସମୟରେ ତୁମ୍ଭମାନଙ୍କୁ କହିଥିଲେ, ତାହା ସ୍ମରଣ କର। 8ସେଥିରେ ସେମାନେ ତାହାଙ୍କ ବାକ୍ୟ ସ୍ମରଣ କଲେ, 9ପୁଣି, ସମାଧିରୁ ବାହୁଡ଼ିଯାଇ ଏକାଦଶ ଶିଷ୍ୟମାନଙ୍କୁ ଓ ଅନ୍ୟ ସମସ୍ତଙ୍କୁ ଏହିସବୁ ସମ୍ବାଦ ଦେଲେ। 10ଏମାନେ ମଗ୍ଦଲୀନୀ ମରୀୟମ, ଯୋହାନା, ଯାକୁବଙ୍କ ମାତା ମରୀୟମ ଓ ଏମାନଙ୍କ ସାଙ୍ଗରେ ଥିବା ଅନ୍ୟ ସ୍ତ୍ରୀଲୋକମାନେ; ଏମାନେ ପ୍ରେରିତମାନଙ୍କୁ ଏହିସବୁ ବିଷୟ ଜଣାଇଲେ। 11ମାତ୍ର ଏସମସ୍ତ କଥା ସେମାନଙ୍କ ନିକଟରେ କଳ୍ପିତ ଗଳ୍ପ ପରି ଲାଗିଲା, ଆଉ ସେମାନେ ସେମାନଙ୍କୁ ବିଶ୍ୱାସ କଲେ ନାହିଁ। 12[କିନ୍ତୁ ପିତର ଉଠି ସମାଧି ନିକଟକୁ ଦୌଡ଼ିଗଲେ ପୁଣି, ନଇଁପଡ଼ି ଚାହିଁ କେବଳ ସୂକ୍ଷ୍ମ ବସ୍ତ୍ରସବୁ ଦେଖିଲେ, ଆଉ ସେ ସେହି ଘଟଣା ବିଷୟରେ ଚମତ୍କୃତ ହୋଇ ଆପଣା ଘରକୁ ଚାଲିଗଲେ।]
ପତ୍ର
9ଏହି ବାକ୍ୟ ବିଶ୍ୱାସଯୋଗ୍ୟ ଓ ସର୍ବତୋଭାବେ ଗ୍ରହଣ ଯୋଗ୍ୟ; 10ଏହି ଉଦ୍ଦେଶ୍ୟରେ ତ ଆମ୍ଭେମାନେ ପରିଶ୍ରମ ଓ ପ୍ରାଣପଣ କରୁଅଛୁ, କାରଣ ଯେଉଁ ଜୀବିତ ଈଶ୍ବର ସମସ୍ତ ମନୁଷ୍ୟଙ୍କର, ବିଶେଷତଃ ବିଶ୍ଵାସୀମାନଙ୍କର ତ୍ରାଣକର୍ତ୍ତା, ତାହାଙ୍କଠାରେ ଆମ୍ଭମାନଙ୍କର ଭରସା ଅଛି। 11ତୁମ୍ଭେ ଏହି ସମସ୍ତ ବିଷୟ ଆଜ୍ଞା ଦେଇ ଶିକ୍ଷା ଦିଅ। 12ତୁମ୍ଭର ଯୌବନ ଅବସ୍ଥା ସକାଶେ କେହି ତୁମ୍ଭକୁ ତୁଚ୍ଛ ନ କରୁ, କିନ୍ତୁ ବାକ୍ୟରେ, ଆଚରଣରେ, ପ୍ରେମରେ, ବିଶ୍ୱାସରେ ଓ ପବିତ୍ରତାରେ ବିଶ୍ଵାସୀମାନଙ୍କର ଉଦାହରଣସ୍ୱରୂପ ହୁଅ। 13ମୁଁ ନ ଯିବା ପର୍ଯ୍ୟନ୍ତ ଶାସ୍ତ୍ରପାଠ, ଉପଦେଶ ଓ ଶିକ୍ଷାଦାନରେ ମନୋଯୋଗ କର। 14ଭାବବାଣୀ ଓ ପ୍ରାଚୀନମାନଙ୍କର ହସ୍ତାର୍ପଣ ଦ୍ୱାରା ତୁମ୍ଭକୁ ଯେଉଁ ଅନୁଗ୍ରହ ଦାନ ଦିଆଯାଇଅଛି, ତାହା ଅବହେଳା ନ କର। 15ତୁମ୍ଭର ଉନ୍ନତି ଯେପରି ସମସ୍ତଙ୍କ ନିକଟରେ ପ୍ରକାଶିତ ହୁଏ, ଏଥିନିମନ୍ତେ ଏହି ସମସ୍ତ ବିଷୟରେ ମନୋଯୋଗୀ ହୁଅ, ସେହି ସବୁରେ ପ୍ରବୃତ୍ତ ଥାଅ।
ପତ୍ର (ସନ୍ଥ ଟ୍ରିଫୋନ୍ଙ୍କ ପାଇଁ)
28ଯେଉଁମାନେ ଈଶ୍ବରଙ୍କୁ ପ୍ରେମ କରନ୍ତି, ଯେଉଁମାନେ ତାହାଙ୍କ ସଂକଳ୍ପ ଅନୁସାରେ ଆହୂତ ହୋଇଅଛନ୍ତି, ଈଶ୍ବର ଯେ ସମସ୍ତ ବିଷୟରେ ସେମାନଙ୍କର ମଙ୍ଗଳ ସାଧନ କରନ୍ତି, ଏହା ଆମ୍ଭେମାନେ ଜାଣୁ। 29କାରଣ ଯେଉଁମାନଙ୍କୁ ସେ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ତାହାଙ୍କ ପୁତ୍ରଙ୍କ ପ୍ରତିମୂର୍ତ୍ତିର ଅନୁରୂପ ହେବା ନିମନ୍ତେ ସେ ପୂର୍ବରୁ ନିରୂପଣ ମଧ୍ୟ କରିଥିଲେ, ଯେପରି ସେ ଅନେକ ଭ୍ରାତାଙ୍କ ମଧ୍ୟରେ ଅଗ୍ରଜ ହୁଅନ୍ତି। 30ଆଉ, ଯେଉଁମାନଙ୍କୁ ସେ ପୂର୍ବରୁ ନିରୂପଣ କରିଥିଲେ, ସେମାନଙ୍କୁ ସେ ମଧ୍ୟ ଆହ୍ୱାନ କଲେ, ପୁଣି, ଯେଉଁମାନଙ୍କୁ ସେ ଆହ୍ୱାନ କଲେ, ସେମାନଙ୍କୁ ସେ ମଧ୍ୟ ଧାର୍ମିକ ବୋଲି ଗଣିଲେ, ଆଉ ଯେଉଁମାନଙ୍କୁ ସେ ଧାର୍ମିକ ବୋଲି ଗଣିଲେ, ସେମାନଙ୍କୁ ସେ ମଧ୍ୟ ଗୌରବାନ୍ୱିତ କଲେ। 31ତେବେ ଏସମସ୍ତ ଦୃଷ୍ଟିରେ ଆମ୍ଭେମାନେ କଅଣ କହିବା? ଯଦି ଈଶ୍ବର ଆମ୍ଭମାନଙ୍କ ସପକ୍ଷ, ତେବେ ଆମ୍ଭମାନଙ୍କ ବିପକ୍ଷ କିଏ? 32ଯେ ଆପଣା ପୁତ୍ରଙ୍କୁ ସୁଦ୍ଧା ରକ୍ଷା କଲେ ନାହିଁ, ମାତ୍ର ଆମ୍ଭ ସମସ୍ତଙ୍କ ନିମନ୍ତେ ତାହାଙ୍କୁ ସମର୍ପଣ କଲେ, ସେ କିପରି ତାହାଙ୍କ ସହିତ ମଧ୍ୟ ସମସ୍ତ ବିଷୟ ଆମ୍ଭମାନଙ୍କୁ ଅନୁଗ୍ରହରେ ଦାନ ନ କରିବେ? 33ଈଶ୍ବରଙ୍କ ମନୋନୀତ ଲୋକମାନଙ୍କ ବିରୁଦ୍ଧରେ କିଏ ଅଭିଯୋଗ କରିବ? ଈଶ୍ବର ତ ସେମାନଙ୍କୁ ଧାର୍ମିକ ବୋଲି ଗଣନା କରନ୍ତି। 34କିଏ ଦଣ୍ଡାଜ୍ଞା ଦେବ? ଖ୍ରୀଷ୍ଟ ଯୀଶୁ ତ ମୃତ୍ୟୁଭୋଗ କଲେ, ବରଂ ସେ ଉତ୍ଥାପିତ ହେଲେ, ସେ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଅଛନ୍ତି, ସେ ମଧ୍ୟ ଆମ୍ଭମାନଙ୍କ ନିମନ୍ତେ ନିବେଦନ କରୁଅଛନ୍ତି। 35ଖ୍ରୀଷ୍ଟଙ୍କ ପ୍ରେମରୁ କିଏ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିବ? କି କ୍ଳେଶ, କି ସଙ୍କଟ, କି ତାଡ଼ନା, କି ଦୁର୍ଭିକ୍ଷ, କି ଉଲଗ୍ନତା, କି ବିପଦ, କି ଖଡ୍ଗ? 36ଯେପରି ଲେଖାଅଛି, “ତୁମ୍ଭ ନିମନ୍ତେ ଆମ୍ଭେମାନେ ସମସ୍ତ ଦିନ ନିହତ ହେଉଅଛୁ; ଆମ୍ଭେମାନେ ବଧଯୋଗ୍ୟ ମେଷ ପରି ଗଣିତ ହୋଇଅଛୁ।” 37ତଥାପି ଯେ ଆମ୍ଭମାନଙ୍କୁ ପ୍ରେମ କଲେ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଏହି ସମସ୍ତ ବିଷୟରେ ସର୍ବତୋଭାବେ ବିଜୟୀ ଅଟୁ। 38କାରଣ ମୃତ୍ୟୁ କି ଜୀବନ, ଦୂତ କି କର୍ତ୍ତାପଣ, ବର୍ତ୍ତମାନ କି ଭବିଷ୍ୟତ କି ପରାକ୍ରମ, 39ଉଚ୍ଚସ୍ଥ ବିଷୟ କି ନୀଚସ୍ଥ ବିଷୟ କି ଅନ୍ୟ କୌଣସି ସୃଷ୍ଟ ବସ୍ତୁ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ପ୍ରକାଶିତ ଈଶ୍ବରଙ୍କ ପ୍ରେମରୁ ଯେ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିପାରିବ ନାହିଁ, ଏହା ମୁଁ ନିଶ୍ଚୟ ଜାଣେ।
ସୁସମାଚାର
1ପରେ ଯୀଶୁ ଯିରୀହୋରେ ପ୍ରବେଶ କରି ତାହା ମଧ୍ୟ ଦେଇ ଯାଉଥିଲେ। 2ଆଉ ଦେଖ, ସେଠାରେ ଜଖୀୟ ନାମରେ ଜଣେ ଲୋକ ଥିଲେ। ସେ ଜଣେ ପ୍ରଧାନ କର ଆଦାୟକାରୀ ଓ ଧନୀ ଲୋକ। 3ଯୀଶୁ କିଏ, ତାହା ଦେଖିବାକୁ ସେ ଚେଷ୍ଟା କରୁଥିଲେ, କିନ୍ତୁ ଲୋକମାନଙ୍କର ଭିଡ଼ ସକାଶୁ ଦେଖି ପାରୁ ନ ଥିଲେ, କାରଣ ସେ ବାଙ୍ଗର ଥିଲେ। 4ଏଣୁ ସେ ଆଗକୁ ଦୌଡ଼ିଯାଇ ଯୀଶୁଙ୍କୁ ଦେଖିବା ନିମନ୍ତେ ଗୋଟିଏ ଡିମ୍ବିରିବୃକ୍ଷରେ ଚଢ଼ିଲେ, କାରଣ ସେହି ବାଟ ଦେଇ ତାହାଙ୍କର ଯିବାର ଥିଲା। 5ଯୀଶୁ ସେ ସ୍ଥାନକୁ ଆସି ଉପରକୁ ଚାହିଁ ତାହାଙ୍କୁ କହିଲେ, “ଜଖୀୟ, ଶୀଘ୍ର ଓହ୍ଲାଇଆସ, କାରଣ ଆଜି ମୋତେ ଅବଶ୍ୟ ତୁମ୍ଭ ଘରେ ରହିବାକୁ ହେବ।” 6ସେଥିରେ ସେ ଶୀଘ୍ର ଓହ୍ଲାଇ ଆସି ଆନନ୍ଦରେ ଯୀଶୁଙ୍କୁ ନିଜ ଘରକୁ ଡାକିଲେ। 7ତାହା ଦେଖି ସମସ୍ତେ ବଚସା କରି କହିବାକୁ ଲାଗିଲେ, ସେ ଜଣେ ପାପୀ ଲୋକ ଘରେ ରହିବାକୁ ଗଲାଣି। 8କିନ୍ତୁ ଜଖୀୟ ଠିଆ ହୋଇ ପ୍ରଭୁଙ୍କୁ କହିଲେ, ହେ ପ୍ରଭୁ, ଦେଖନ୍ତୁ, ମୋହର ସମ୍ପତ୍ତିର ଅଧା ମୁଁ ଗରିବମାନଙ୍କୁ ଦାନ କରୁଅଛି, ଆଉ ଯଦି ଅନ୍ୟାୟରେ କାହାରିଠାରୁ କିଛି ନେଇଥାଏ, ତେବେ ଚାରି ଗୁଣରେ ତାହା ଫେରାଇ ଦେଉଅଛି। 9ସେଥିରେ ଯୀଶୁ ତାହାଙ୍କ ବିଷୟରେ କହିଲେ, “ଆଜି ଏହି ଗୃହରେ ପରିତ୍ରାଣ ଉପସ୍ଥିତ ହୋଇଅଛି, ଯେଣୁ ଜଖୀୟ ମଧ୍ୟ ଅବ୍ରହାମଙ୍କ ଜଣେ ସନ୍ତାନ; 10କାରଣ ଯାହା ହଜିଅଛି, ତାହା ଖୋଜି ରକ୍ଷା କରିବାକୁ ମନୁଷ୍ୟପୁତ୍ର ଆସିଅଛନ୍ତି।”
ସୁସମାଚାର (ସନ୍ଥ ଟ୍ରିଫୋନ୍ଙ୍କ ପାଇଁ)
19ଦେଖ, ମୁଁ ତୁମ୍ଭମାନଙ୍କୁ ସାପ ଓ ବିଛା ଉପରେ ଚାଲିବାକୁ କ୍ଷମତା ଦେଇଅଛି, ପୁଣି, ଶତ୍ରୁର ସମସ୍ତ ଶକ୍ତି ଉପରେ ମଧ୍ୟ କ୍ଷମତା ଦେଇଅଛି, ଆଉ କିଛି ହେଲେ କୌଣସି ପ୍ରକାରେ ତୁମ୍ଭମାନଙ୍କର କ୍ଷତି କରିବ ନାହିଁ। 20ତଥାପି ଆତ୍ମାମାନେ ଯେ ତୁମ୍ଭମାନଙ୍କର ବଶୀଭୂତ ଅଟନ୍ତି, ଏଥିରେ ଆନନ୍ଦ କର ନାହିଁ, କିନ୍ତୁ ତୁମ୍ଭମାନଙ୍କ ନାମ ଯେ ସ୍ୱର୍ଗରେ ଲେଖାଅଛି, ଏଥିରେ ଆନନ୍ଦ କର।” 21ସେହି ସମୟରେ ସେ ପବିତ୍ର ଆତ୍ମାଙ୍କଠାରେ ଉଲ୍ଲସିତ ହୋଇ କହିଲେ, “ପିତା ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏଥିନିମନ୍ତେ ତୁମ୍ଭର ପ୍ରଶଂସା କରୁଅଛି; ହଁ, ପିତା, କାରଣ ଏହା ତୁମ୍ଭ ଦୃଷ୍ଟିରେ ସନ୍ତୋଷର ବିଷୟ ହେଲା।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଫେବୃଆରୀ 1 ନାଗରିକ ପଞ୍ଜିକାର ଫେବୃଆରୀ 14। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର