ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଫେବୃଆରୀ 2027 › ଫେବୃଆରୀ 16
ଅର୍ଥୋଡକ୍ସ ପଞ୍ଜିକା · 3 ଫେବୃଆରୀ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 16 ଫେବୃଆରୀ 2027
ମଙ୍ଗଳବାର · ପେଣ୍ଟିକଷ୍ଟ ପରେ 38ତମ ସପ୍ତାହ · ସ୍ୱର 4
ପର୍ବ ଓ ସନ୍ଥ
Afterfeast of the Meeting of the Lord
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର (ସୋମବାର ପାଇଁ)
21ଏଥିନିମନ୍ତେ ହିଁ ତୁମ୍ଭେମାନେ ଆହୂତ ହୋଇଅଛ, କାରଣ ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ପଦଚିହ୍ନ ଦେଇ ଗମନ କର, ସେଥିପାଇଁ ସେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ଦୁଃଖଭୋଗ କରି ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଦେଇ ଯାଇଅଛନ୍ତି; 22“ସେ କୌଣସି ପାପ କଲେ ନାହିଁ, କିଅବା ତାହାଙ୍କ ମୁଖରେ କୌଣସି ଛଳକଥା ନ ଥିଲା।” 23ସେ ନିନ୍ଦା ପାଇବା ବଦଳରେ ଫେରି ନିନ୍ଦା କଲେ ନାହିଁ; ଦୁଃଖଭୋଗ ସହ୍ୟ କରିବା ବଦଳରେ ପ୍ରତିହିଂସା କରିବାକୁ ଭୟ ଦେଖାଇଲେ ନାହିଁ, କିନ୍ତୁ ନ୍ୟାୟବିଚାରକର୍ତ୍ତା ଈଶ୍ବରଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କଲେ; 24ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନଯାପନ କରୁ, ଏଥିନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ। 25କାରଣ ତୁମ୍ଭେମାନେ ମେଷ ତୁଲ୍ୟ ବିପଥଗାମୀ ହୋଇଥିଲ, କିନ୍ତୁ ଏବେ ତୁମ୍ଭମାନଙ୍କ ଆତ୍ମାର ପାଳକ ଓ ଅଧ୍ୟକ୍ଷଙ୍କ ନିକଟକୁ ବାହୁଡ଼ି ଆସିଅଛ। 3:1ସେହିପରି, ହେ ଭାର୍ଯ୍ୟାମାନେ, ତୁମ୍ଭେମାନେ ଆପଣା ଆପଣା ସ୍ୱାମୀଙ୍କର ବଶୀଭୂତା ହୁଅ, 2ଯେପରି ସେମାନଙ୍କ ମଧ୍ୟରୁ କେହି କେହି ବାକ୍ୟର ଅନାଜ୍ଞାବହ ହେଲେ ସୁଦ୍ଧା ତୁମ୍ଭମାନଙ୍କର ସଭୟ ସଦାଚରଣ ଦେଖି ବାକ୍ୟ ବିନୁ ଆପଣା ଆପଣା ଭାର୍ଯ୍ୟାର ଆଚରଣ ଦ୍ୱାରା ପରିବର୍ତ୍ତିତ ହେବେ। 3ପୁଣି, କେଶବେଶ, ସୁବର୍ଣ୍ଣ ଆଭରଣ ଓ ସୁନ୍ଦର ବସ୍ତ୍ର ପରିଧାନ, ଏପରି ଯେଉଁ ବାହ୍ୟ ଭୂଷଣ, ତାହା ତୁମ୍ଭମାନଙ୍କର ଭୂଷଣ ନ ହୋଇ, 4ହୃଦୟର ଯେଉଁ କୋମଳ ଓ ଶାନ୍ତିଯୁକ୍ତ ଗୁପ୍ତ ସ୍ୱଭାବ ଈଶ୍ବରଙ୍କ ଦୃଷ୍ଟିରେ ବହୁମୂଲ୍ୟ, ତାହା ହିଁ ତୁମ୍ଭମାନଙ୍କର ଅକ୍ଷୟ ଭୂଷଣ ହେଉ। 5କାରଣ ପୂର୍ବକାଳରେ ସାଧ୍ୱୀ ସ୍ତ୍ରୀମାନେ ମଧ୍ୟ ଈଶ୍ବରଙ୍କଠାରେ ଭରସା ରଖି ଆପଣା ଆପଣା ସ୍ୱାମୀଙ୍କର ବଶୀଭୂତା ହୋଇ ଏହି ପ୍ରକାରେ ଆପଣା ଆପଣାକୁ ଭୂଷିତା କରୁଥିଲେ। 6ସେହିପରି ସାରା ଅବ୍ରହାମଙ୍କୁ ପ୍ରଭୁ ବୋଲି କହି ତାହାଙ୍କର ଆଜ୍ଞାବହ ହେଲେ; ତୁମ୍ଭେମାନେ ଯଦି କୌଣସି ବିଷୟରେ ଭୀତ ନ ହୋଇ ସଦାଚରଣ କର, ତେବେ ତୁମ୍ଭେମାନେ ହିଁ ତାହାଙ୍କର ସନ୍ତାନ। 7ସେହି ପ୍ରକାରେ, ହେ ସ୍ୱାମୀମାନେ, ତୁମ୍ଭମାନଙ୍କ ପ୍ରାର୍ଥନାରେ ଯେପରି ବାଧା ନ ଜନ୍ମେ, ଏଥିନିମନ୍ତେ ସ୍ତ୍ରୀମାନଙ୍କୁ ଅପେକ୍ଷାକୃତ ଦୁର୍ବଳା-ପାତ୍ରୀ ଓ ଆପଣାମାନଙ୍କ ସହିତ ଜୀବନରୂପ ଅନୁଗ୍ରହଦାନର ସହାଧିକାରିଣୀ ଜାଣି ସେମାନଙ୍କୁ ସମାଦର କର, ପୁଣି, ଜ୍ଞାନରେ ସେମାନଙ୍କର ସହିତ ବାସ କର। 8ଶେଷ କଥା ଏହି, ତୁମ୍ଭେମାନେ ସମସ୍ତେ ଏକମନା, ପରସ୍ପରର ସୁଖଦୁଃଖର ସହଭାଗୀ, ଭ୍ରାତୃପ୍ରେମରେ ପ୍ରେମୀ, କୋମଳ ହୃଦୟ ଓ ନମ୍ରଚିତ୍ତ ହୁଅ; 9ଅନିଷ୍ଟ ପରିବର୍ତ୍ତେ ଅନିଷ୍ଟ କିଅବା ନିନ୍ଦାର ପରିବର୍ତ୍ତେ ନିନ୍ଦା ନ କରି ଅନ୍ୟ ପକ୍ଷରେ ବରଂ ଆଶୀର୍ବାଦ କର, କାରଣ ତୁମ୍ଭେମାନେ ଯେପରି ଆଶୀର୍ବାଦର ଅଧିକାରୀ ହୁଅ, ଏଥିପାଇଁ ଆହୂତ ହୋଇଅଛ।
ପତ୍ର
10ଯେଣୁ, “ଯେ ଜୀବନରେ ସୁଖଭୋଗ କରିବାକୁ ପୁଣି, ମଙ୍ଗଳର ଦିନ ଦେଖିବାକୁ ଇଚ୍ଛା କରେ, ସେ ମନ୍ଦ ବାକ୍ୟରୁ ଆପଣା ଜିହ୍ୱାକୁ, ଆଉ ପ୍ରବଞ୍ଚନା ବାକ୍ୟରୁ ଆପଣା ଓଷ୍ଠାଧରକୁ ବନ୍ଦ କରୁ; 11ସେ ମନ୍ଦରୁ ବିମୁଖ ହୋଇ ସତ୍କର୍ମ କରୁ; ସେ ଶାନ୍ତି ଅନ୍ୱେଷଣ କରି ସେଥିର ଅନୁଗାମୀ ହେଉ। 12କାରଣ ଧାର୍ମିକମାନଙ୍କ ପ୍ରତି ପ୍ରଭୁଙ୍କ ଦୃଷ୍ଟି ଅଛି, ସେମାନଙ୍କ ବିନତି ପ୍ରତି ତାହାଙ୍କ କର୍ଣ୍ଣ ଉନ୍ମୁକ୍ତ ଅଟେ, କିନ୍ତୁ ପ୍ରଭୁଙ୍କର ମୁଖ ଦୁଷ୍କର୍ମକାରୀମାନଙ୍କ ପ୍ରତିକୂଳ।” 13ଆଉ ତୁମ୍ଭେମାନେ ଯଦି ଉତ୍ତମ ବିଷୟରେ ଉଦ୍ଯୋଗୀ ହୁଅ, ତେବେ କିଏ ତୁମ୍ଭମାନଙ୍କର ଅନିଷ୍ଟ କରିବ? 14ପୁଣି, ଯଦିବା ଧାର୍ମିକତା ସକାଶେ ତୁମ୍ଭମାନଙ୍କୁ ଦୁଃଖଭୋଗ କରିବାକୁ ପଡ଼େ, ତାହାହେଲେ ତୁମ୍ଭେମାନେ ଧନ୍ୟ। ସେମାନେ ଭୟ ଦେଖାଇଲେ ଭୀତ କିଅବା ଉଦ୍ବିଗ୍ନ ହୁଅ ନାହିଁ; 15କିନ୍ତୁ ଖ୍ରୀଷ୍ଟଙ୍କୁ ପ୍ରଭୁ ବୋଲି ଆପଣା ଆପଣା ହୃଦୟରେ ପବିତ୍ର ରୂପେ ମାନ୍ୟ କର। ତୁମ୍ଭମାନଙ୍କଠାରେ ଥିବା ଭରସାର କାରଣ ସମ୍ବନ୍ଧରେ ଯେ କେହି ପ୍ରଶ୍ନ କରେ, ତାହାକୁ ପ୍ରତ୍ୟୁତ୍ତର ଦେବାକୁ ପ୍ରସ୍ତୁତ ରୁହ, କିନ୍ତୁ ନମ୍ର ଭାବରେ ଓ ସଭୟରେ ଉତ୍ତମ ବିବେକ ସହ ଉତ୍ତର ଦିଅ, 16ଯେପରି ତୁମ୍ଭମାନଙ୍କ ନିନ୍ଦକମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କର ଖ୍ରୀଷ୍ଟୀୟ ଆଚରଣର ଦୋଷାରୋପ କରନ୍ତି, ସେଥିରେ ସେମାନେ ଲଜ୍ଜିତ ହେବେ। 17କାରଣ ଦୁଷ୍କର୍ମ ସକାଶେ ଦୁଃଖଭୋଗ କରିବାଠାରୁ ବରଂ ଯଦି ଈଶ୍ବରଙ୍କର ଇଚ୍ଛା ହୁଏ, ତାହାହେଲେ ସତ୍କର୍ମ ସକାଶେ ଦୁଃଖଭୋଗ କରିବା ଭଲ। 18ଯେଣୁ ଆମ୍ଭମାନଙ୍କୁ ଈଶ୍ବରଙ୍କ ନିକଟକୁ ଆଣିବା ପାଇଁ ଖ୍ରୀଷ୍ଟ ମଧ୍ୟ ଧାର୍ମିକ ହୋଇ ଅଧାର୍ମିକମାନଙ୍କ ନିମନ୍ତେ ପାପ ହେତୁ ଥରେ ମୃତ୍ୟୁଭୋଗ କଲେ। ସେ ଶରୀରରେ ମୃତ୍ୟୁଭୋଗ କଲେ ସତ, କିନ୍ତୁ ଆତ୍ମାରେ ଜୀବିତ ହେଲେ; 19ସେଥିରେ ମଧ୍ୟ ସେ ବନ୍ଦୀ ଆତ୍ମାମାନଙ୍କ ନିକଟକୁ ଯାଇ ପ୍ରଚାର କଲେ; 20ପୂର୍ବକାଳରେ ନୋହଙ୍କ ସମୟରେ ଜାହାଜ ନିର୍ମିତ ହେଉଥିବା ବେଳେ, ଯେତେବେଳେ ଈଶ୍ବର ଦୀର୍ଘସହିଷ୍ଣୁ ହୋଇ ଅପେକ୍ଷା କରୁଥିଲେ, ସେହି ସମୟରେ ସେମାନେ ଅବାଧ୍ୟ ହୋଇଥିଲେ। ସେହି ଜାହାଜରେ ପ୍ରବେଶ କରି ଅଳ୍ପ ଲୋକ, ଅର୍ଥାତ୍ ଆଠ ପ୍ରାଣୀ, ଜଳ ମଧ୍ୟ ଦେଇ ରକ୍ଷା ପାଇଲେ; 21ସେଥିର ପ୍ରତିରୂପ ବାପ୍ତିସ୍ମ ଅର୍ଥାତ୍ ଶରୀରର ମଳିନତା ଦୂରୀକରଣ ନୁହେଁ, କିନ୍ତୁ ଈଶ୍ବରଙ୍କ ନିକଟରେ ଶୁଚି ବିବେକ ପାଇବା ନିମନ୍ତେ ପ୍ରାର୍ଥନା, ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଏବେ ତୁମ୍ଭମାନଙ୍କୁ ପରିତ୍ରାଣ କରୁଅଛି; 22ସେହି ଯୀଶୁ ଖ୍ରୀଷ୍ଟ ସ୍ୱର୍ଗାରୋହଣ କରି ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଅଛନ୍ତି, ଆଉ ଦୂତମାନେ, କ୍ଷମତାବାନ ଓ ଶକ୍ତିଶାଳୀମାନେ ତାହାଙ୍କ ବଶୀଭୂତ ହୋଇଅଛନ୍ତି।
ପତ୍ର (ସନ୍ଥ ଶିମିୟୋନ ଓ ସନ୍ଥ ହାନ୍ନାଙ୍କ ପାଇଁ)
11କିନ୍ତୁ ଖ୍ରୀଷ୍ଟ ବର୍ତ୍ତମାନ ଉତ୍ତମ ବିଷୟର ମହାଯାଜକ ସ୍ୱରୂପେ ଉପସ୍ଥିତ ହୋଇ ଏହି ସୃଷ୍ଟିରୁ ଭିନ୍ନ ଅହସ୍ତକୃତ ମହତ୍ ଓ ଶ୍ରେଷ୍ଠତର ତମ୍ବୁ ଦେଇ ଯାଇ ଛାଗ ଓ ଗୋବତ୍ସର ରକ୍ତ ନୁହେଁ, 12ମାତ୍ର ଆପଣାର ରକ୍ତ ଘେନି ଏକାଥରକେ ମହାପବିତ୍ର ସ୍ଥାନରେ ପ୍ରବେଶ କରି ଅନନ୍ତ ମୁକ୍ତି ସାଧନ କରିଅଛନ୍ତି। 13କାରଣ ଯଦି ଛାଗ ଓ ବୃଷମାନଙ୍କ ରକ୍ତ ପୁଣି, ଅଶୁଚିମାନଙ୍କ ଉପରେ ସେଚିତ ଗାଭୀଭସ୍ମ ଶରୀରକୁ ପବିତ୍ର କରେ, 14ତେବେ ଯେଉଁ ଖ୍ରୀଷ୍ଟ ଚିରନ୍ତନ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁନ୍ତ ବଳି ସ୍ୱରୂପେ ଈଶ୍ବରଙ୍କ ନିକଟରେ ଉତ୍ସର୍ଗ କଲେ, ତାହାଙ୍କ ରକ୍ତ କେତେ ଅଧିକ ପରିମାଣରେ ଜୀବିତ ଈଶ୍ବରଙ୍କ ସେବା କରିବା ନିମନ୍ତେ ମୃତ କର୍ମରୁ ଆମ୍ଭମାନଙ୍କ ବିବେକକୁ ଶୁଦ୍ଧ ନ କରିବ!
ସୁସମାଚାର (ସୋମବାର ପାଇଁ)
13ପରେ ଯୀଶୁଙ୍କ କଥାର ଛିଦ୍ର ଧରିବା ନିମନ୍ତେ ସେମାନେ ଫାରୂଶୀ ଓ ହେରୋଦୀୟମାନଙ୍କ ମଧ୍ୟରୁ କେତେକଙ୍କୁ ତାହାଙ୍କ ପାଖକୁ ପଠାଇଲେ। 14ସେମାନେ ଆସି ତାହାଙ୍କୁ କହିଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ସତ୍ୟ ଓ କାହାକୁ ଭୟ କରନ୍ତି ନାହିଁ; କାରଣ ଆପଣ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, ମାତ୍ର ସତ୍ୟ ରୂପେ ଈଶ୍ବରଙ୍କ ମାର୍ଗ ଶିକ୍ଷା ଦିଅନ୍ତି। କାଇସରଙ୍କୁ କର ଦେବା ବିଧିସଙ୍ଗତ କି ନୁହେଁ? 15ଆମ୍ଭେମାନେ ଦେବା କି ନାହିଁ? କିନ୍ତୁ ଯୀଶୁ ସେମାନଙ୍କର କପଟତା ଜାଣି ସେମାନଙ୍କୁ କହିଲେ, “କାହିଁକି ମୋତେ ପରୀକ୍ଷା କରୁଅଛ? ଗୋଟିଏ ମୁଦ୍ରା ମୋʼ ପାଖକୁ ଆଣ, ମୁଁ ତାହା ଦେଖେ।” 16ତହିଁରେ ସେମାନେ ତାହା ଆଣିଲେ। ଯୀଶୁ ସେମାନଙ୍କୁ ପଚାରିଲେ, “ଏହି ମୂର୍ତ୍ତି ଓ ନାମ କାହାର?” ସେମାନେ ତାହାଙ୍କୁ କହିଲେ, କାଇସରଙ୍କର। 17ସେଥିରେ ଯୀଶୁ ସେମାନଙ୍କୁ କହିଲେ, “କାଇସରଙ୍କର ଯାହା, ତାହା କାଇସରଙ୍କୁ ଦିଅ; ପୁଣି, ଈଶ୍ବରଙ୍କର ଯାହା, ତାହା ଈଶ୍ବରଙ୍କୁ ଦିଅ।” ତହିଁରେ ସେମାନେ ଯୀଶୁଙ୍କ କଥାରେ ଅତ୍ୟନ୍ତ ଚମତ୍କୃତ ହେଲେ।
ସୁସମାଚାର
18ଏଥିଉତ୍ତାରେ ପୁନରୁତ୍ଥାନକୁ ଅସ୍ୱୀକାର କରୁଥିବା ସାଦ୍ଦୂକୀମାନେ ତାହାଙ୍କ ନିକଟକୁ ଆସି ପଚାରିବାକୁ ଲାଗିଲେ, 19ହେ ଗୁରୁ, ମୋଶା ଆମ୍ଭମାନଙ୍କ ନିମନ୍ତେ ଲେଖିଅଛନ୍ତି ଯେ, ଯଦି କୌଣସି ଲୋକର ଭାଇ ମରେ, ଆଉ ତାହାର ଭାର୍ଯ୍ୟା ଜୀବିତା ଥାଏ, ପୁଣି, ତାହାର କୌଣସି ସନ୍ତାନ ନ ଥାଏ, ତାହାହେଲେ ତାହାର ଭାଇ ତାହାର ଭାର୍ଯ୍ୟାକୁ ଗ୍ରହଣ କରି ଆପଣା ଭାଇ ନିମନ୍ତେ ବଂଶ ଉତ୍ପନ୍ନ କରିବ। 20ଦେଖନ୍ତୁ, ସାତ ଭାଇ ଥିଲେ; ପ୍ରଥମଟି ଗୋଟିଏ ସ୍ତ୍ରୀକୁ ବିବାହ କଲା ଓ ନିଃସନ୍ତାନ ହୋଇ ମଲା; 21ପରେ ଦ୍ୱିତୀୟଟି ତାହାକୁ ଗ୍ରହଣ କରି ନିଃସନ୍ତାନ ହୋଇ ମଲା; ତୃତୀୟଟି ସେହି ପ୍ରକାର କଲା, 22ଆଉ ସାତ ଜଣଯାକ ନିଃସନ୍ତାନ ହୋଇ ମଲେ; ସମସ୍ତଙ୍କ ଶେଷରେ ସେହି ସ୍ତ୍ରୀ ମଧ୍ୟ ମଲା। 23ପୁନରୁତ୍ଥାନ ସମୟରେ ଯେତେବେଳେ ସେମାନେ ଉଠିବେ, ସେତେବେଳେ ସେମାନଙ୍କ ମଧ୍ୟରୁ ସେ କାହାର ସ୍ତ୍ରୀ ହେବ? ସାତ ଜଣଯାକ ତ ତାହାକୁ ବିବାହ କରିଥିଲେ। 24ଯୀଶୁ ସେମାନଙ୍କୁ କହିଲେ, “ଧର୍ମଶାସ୍ତ୍ର ପୁଣି, ଈଶ୍ବରଙ୍କ ଶକ୍ତି ମଧ୍ୟ ନ ଜାଣିବା କି ତୁମ୍ଭମାନଙ୍କ ଭ୍ରାନ୍ତିର କାରଣ ନୁହେଁ? 25ଯେଣୁ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ହେଲା ଉତ୍ତାରେ ଲୋକେ ବିବାହ କରନ୍ତି ନାହିଁ କିମ୍ବା ବିବାହିତା ହୁଅନ୍ତି ନାହିଁ, କିନ୍ତୁ ସ୍ୱର୍ଗସ୍ଥ ଦୂତମାନଙ୍କ ପରି ରୁହନ୍ତି। 26ମାତ୍ର ମୃତମାନେ ଯେ ଉତ୍ଥିତ ହୁଅନ୍ତି, ସେ ସମ୍ବନ୍ଧରେ ତୁମ୍ଭେମାନେ କି ମୋଶାଙ୍କ ଶାସ୍ତ୍ରରେ ବୁଦାର ବୃତ୍ତାନ୍ତରେ ପାଠ କରି ନାହଁ ଯେ ଈଶ୍ବର କିପରି ତାହାଙ୍କୁ କହିଲେ, ଆମ୍ଭେ ଅବ୍ରହାମଙ୍କ ଈଶ୍ବର, ଇସ୍ହାକଙ୍କ ଈଶ୍ବର ଓ ଯାକୁବଙ୍କ ଈଶ୍ବର? 27ସେ ମୃତମାନଙ୍କର ଈଶ୍ବର ନୁହଁନ୍ତି, ମାତ୍ର ଜୀବିତମାନଙ୍କର। ତୁମ୍ଭେମାନେ ବଡ଼ ଭ୍ରାନ୍ତ ହେଉଅଛ।”
ସୁସମାଚାର (ସନ୍ଥ ଶିମିୟୋନ ଓ ସନ୍ଥ ହାନ୍ନାଙ୍କ ପାଇଁ)
25ଆଉ ଦେଖ, ଯିରୂଶାଲମ ସହରରେ ଶିମିୟୋନ ନାମକ ଜଣେ ଧାର୍ମିକ ଓ ଭକ୍ତ ବ୍ୟକ୍ତି ଥିଲେ; ସେ ଇସ୍ରାଏଲର ସାନ୍ତ୍ୱନା ଅପେକ୍ଷା କରୁଥିଲେ, ପୁଣି, ପବିତ୍ର ଆତ୍ମା ତାହାଙ୍କଠାରେ ଅଧିଷ୍ଠାନ କରିଥିଲେ। 26ପ୍ରଭୁ ଖ୍ରୀଷ୍ଟଙ୍କର ଦର୍ଶନ ନ ପାଇଲେ ତାହାଙ୍କର ଯେ ମୃତ୍ୟୁ ହେବ ନାହିଁ, ପବିତ୍ର ଆତ୍ମାଙ୍କ ଦ୍ୱାରା ତାହାଙ୍କୁ ଏହି ପ୍ରତ୍ୟାଦେଶ ଦିଆଯାଇଥିଲା। 27ସେ ପବିତ୍ର ଆତ୍ମାଙ୍କ ଦ୍ୱାରା ଚାଳିତ ହୋଇ ମନ୍ଦିରକୁ ଆସିଲେ, ପୁଣି, ଶିଶୁ ଯୀଶୁଙ୍କ ପିତାମାତା ଯେତେବେଳେ ତାହାଙ୍କ ବିଷୟରେ ମୋଶାଙ୍କ ବ୍ୟବସ୍ଥାର ନିୟମ ଅନୁଯାୟୀ କର୍ମ କରିବା ନିମନ୍ତେ ତାହାଙ୍କୁ ଭିତରକୁ ଆଣିଲେ, 28ସେତେବେଳେ ସେ ତାହାଙ୍କୁ କୋଳରେ ଘେନି ଈଶ୍ବରଙ୍କ ପ୍ରଶଂସା କରି କହିଲେ, 29“ହେ ପ୍ରଭୁ, ଏବେ ତୁମ୍ଭେ ଆପଣା ବାକ୍ୟ ଅନୁସାରେ ନିଜ ଦାସକୁ ଶାନ୍ତିରେ ଯିବାକୁ ଦେଉଅଛ; 30କାରଣ ମୋହର ଚକ୍ଷୁ ତୁମ୍ଭର ପରିତ୍ରାଣ ଦେଖିଅଛି, 31ଯାହା ତୁମ୍ଭେ ସମସ୍ତ ଲୋକମାନଙ୍କ ସମ୍ମୁଖରେ ପ୍ରସ୍ତୁତ କରି, 32ଅଣଯିହୁଦୀମାନଙ୍କ ପ୍ରତି ସତ୍ୟ ପ୍ରକାଶକ ଆଲୋକ, ପୁଣି, ତୁମ୍ଭ ଲୋକ ଇସ୍ରାଏଲର ଗୌରବସ୍ୱରୂପ କରିଅଛ।” 33ତାହାଙ୍କ ସମ୍ବନ୍ଧୀୟ କୁହାଯାଇଥିବା ସମସ୍ତ ବିଷୟରେ ତାହାଙ୍କ ପିତାମାତା ଚମତ୍କୃତ ହେଉଥିଲେ। 34ଆଉ, ଶିମିୟୋନ ସେମାନଙ୍କୁ ଆଶୀର୍ବାଦ କରି ତାହାଙ୍କ ମାତା ମରୀୟମଙ୍କୁ କହିଲେ, ଦେଖ, ଯେପରି ଅନେକଙ୍କ ହୃଦୟର ଭାବନା ପ୍ରକାଶିତ ହୁଏ, 35ସେଥିପାଇଁ ଏହି ଶିଶୁ ଇସ୍ରାଏଲ ମଧ୍ୟରେ ଅନେକଙ୍କ ପତନ ଓ ଉତ୍ଥାନ ନିମନ୍ତେ ଏବଂ ଯାହା ବିରୁଦ୍ଧରେ କଥା କୁହାଯିବ, ଏପରି ଚିହ୍ନ ହେବା ନିମନ୍ତେ ନିରୂପିତ, ପୁଣି, ତୁମ୍ଭ ନିଜ ପ୍ରାଣକୁ ମଧ୍ୟ ଖଡ୍ଗ ବିଦ୍ଧ କରିବ। 36ଆଉ ହାନ୍ନା ନାମ୍ନୀ ଜଣେ ଭାବବାଦିନୀ ଥିଲେ; ସେ ଆଶେର ବଂଶଜ ଫିନୂୟେଲଙ୍କ କନ୍ୟା। ତାହାଙ୍କର ଅନେକ ବୟସ ହୋଇଥିଲା; ସେ କୁମାରୀ ଅବସ୍ଥା ପରେ ସାତ ବର୍ଷ ସ୍ୱାମୀଙ୍କ ସହିତ ବାସ କରିଥିଲେ ଓ ଚଊରାଅଶୀ ବର୍ଷ ପର୍ଯ୍ୟନ୍ତ ବିଧବା ହୋଇ ରହିଥିଲେ। 37ସେ ମନ୍ଦିର ନ ଛାଡ଼ି ଉପବାସ ଓ ନିବେଦନ ସହ ଦିନରାତି ଉପାସନା କରୁଥିଲେ। 38ସେହି ଦଣ୍ଡରେ ସେ ଉପସ୍ଥିତ ହୋଇ ଈଶ୍ବରଙ୍କ ପ୍ରଶଂସା କରୁ କରୁ ଯିରୂଶାଲମ ସହରର ମୁକ୍ତି ଅପେକ୍ଷାରେ ଥିବା ସମସ୍ତଙ୍କୁ ତାହାଙ୍କ ବିଷୟ କହିବାକୁ ଲାଗିଲେ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଫେବୃଆରୀ 3 ନାଗରିକ ପଞ୍ଜିକାର ଫେବୃଆରୀ 16। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର