Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଫେବୃଆରୀ 2027 › ଫେବୃଆରୀ 26

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 26 ଫେବୃଆରୀ 2027

ଶୁକ୍ରବାର · ଉପବାସ କାଳର ଦ୍ୱିତୀୟ ସପ୍ତାହ

ପର୍ବ ଓ ସନ୍ଥ

ଉପବାସ କାଳର ଦ୍ୱିତୀୟ ସପ୍ତାହର ଶୁକ୍ରବାର

ସାଧାରଣ ଦିନ · ଉପାସନାର ରଙ୍ଗ: ବାଇଗଣୀ

ଉପବାସ ଓ ପ୍ରାୟଶ୍ଚିତ୍ତ

ମାଂସରୁ ବିରତି

ପ୍ରତ୍ୟେକ ଶୁକ୍ରବାର ପ୍ରାୟଶ୍ଚିତ୍ତର ଦିନ; ପ୍ରତ୍ୟେକ ବିଶପ୍ ସମ୍ମିଳନୀ ଏହା କିପରି ପାଳିବାକୁ ହେବ ସ୍ଥିର କରେ: ମାଂସରୁ ବିରତି କିମ୍ବା ପ୍ରାୟଶ୍ଚିତ୍ତର ଅନ୍ୟ କାର୍ଯ୍ୟ। ଉପବାସ 18ରୁ 59 ବର୍ଷ ପର୍ଯ୍ୟନ୍ତ, ବିରତି 14 ବର୍ଷରୁ ବାଧ୍ୟତାମୂଳକ।

ଦିନର ପାଠ

ପ୍ରଥମ ପାଠ

ଆଦି 37:3–4, 12–13, 17–28

3ସେହି ଯୋଷେଫ ଇସ୍ରାଏଲର ବୃଦ୍ଧାବସ୍ଥାର ସନ୍ତାନ ହେବା ସକାଶୁ ଇସ୍ରାଏଲ ସମସ୍ତ ପୁତ୍ରଠାରୁ ତାକୁ ଅଧିକ ସ୍ନେହ କଲେ, ଆଉ ତାକୁ ନାନା ବର୍ଣ୍ଣର ଏକ ଅଙ୍ଗରଖା ପ୍ରସ୍ତୁତ କରି ଦେଇଥିଲେ। 4ମାତ୍ର ପିତା ସମସ୍ତ ପୁତ୍ର ଅପେକ୍ଷା ଯୋଷେଫକୁ ଅଧିକ ସ୍ନେହ କରିବାର ଦେଖି ତାହାର ଭାଇମାନେ ତାକୁ ଘୃଣା କଲେ ଓ ତାହା ପ୍ରତି ପ୍ରେମର କଥା କହି ପାରିଲେ ନାହିଁ। 12ତଦନନ୍ତର ତାହାର ଭ୍ରାତୃଗଣ ପିତାଙ୍କର ପଶୁପଲ ଚରାଇବା ପାଇଁ ଶିଖିମକୁ ଗଲା ଉତ୍ତାରେ 13ଇସ୍ରାଏଲ ଯୋଷେଫକୁ କହିଲେ, “ତୁମ୍ଭର ଭ୍ରାତୃଗଣ କି ଶିଖିମରେ ପଶୁପଲ ଚରାଉ ନାହାନ୍ତି? ଆସ, ମୁଁ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଇବି;” ତହିଁରେ ସେ କହିଲା, “ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।” 17ସେ ମନୁଷ୍ୟ କହିଲା, “ସେମାନେ ଏଠାରୁ ଯାଇଅଛନ୍ତି; କାରଣ ମୁଁ ଶୁଣିଥିଲି, ‘ସେମାନେ ଦୋଥନକୁ ଯିବେ ବୋଲି କହୁଥିଲେ।’” ଏଣୁ ଯୋଷେଫ ଆପଣା ଭାଇମାନଙ୍କ ପଛେ ପଛେ ଯାଇ ଦୋଥନରେ ସେମାନଙ୍କର ଦେଖା ପାଇଲା। 18ସେମାନେ ତାହାକୁ ଦୂରରୁ ଦେଖିଲେ, ପୁଣି, ସେ ସେମାନଙ୍କ ନିକଟରେ ପହଞ୍ଚିବା ପୂର୍ବେ ସେମାନେ ତାକୁ ବଧ କରିବା ପାଇଁ ମନ୍ତ୍ରଣା କଲେ। 19ଆଉ, ସେମାନେ ଏକ ଆରେକକୁ କହିଲେ, “ଏହି ଦେଖ, ସ୍ୱପ୍ନଦର୍ଶକ ମହାଶୟ ଆସୁଅଛନ୍ତି। 20ଆସ, ଆମ୍ଭେମାନେ ତାକୁ ବଧ କରି କୌଣସି ଏକ ଗାତରେ ପକାଇ ଦେଉ; ପୁଣି, ‘କୌଣସି ହିଂସ୍ରକ ଜନ୍ତୁ ତାକୁ ଖାଇପକାଇଲା ବୋଲି କହିବା;’ ଆଚ୍ଛା ଦେଖିବା, ତାହାର ସ୍ୱପ୍ନ ସବୁର କଅଣ ହେବ।” 21ଏ କଥା ଶୁଣି ରୁବେନ୍‍ ସେମାନଙ୍କ ହସ୍ତରୁ ତାକୁ ରକ୍ଷା କରି କହିଲା, “ନା, ଆମ୍ଭେମାନେ ତାକୁ ପ୍ରାଣରେ ମାରି ପକାଇବା ନାହିଁ।” 22ଆଉ ରୁବେନ୍‍ ସେମାନଙ୍କ ହସ୍ତରୁ ତାକୁ ରକ୍ଷା କରି ପିତା ନିକଟକୁ ଫେରି ପଠାଇବା ମାନସରେ ସେମାନଙ୍କୁ କହିଲା, “ତୁମ୍ଭେମାନେ ରକ୍ତପାତ କର ନାହିଁ, ପ୍ରାନ୍ତରର ଏହି ଗର୍ତ୍ତ ମଧ୍ୟରେ ତାକୁ ପକାଇଦିଅ, ମାତ୍ର ତାହା ପ୍ରତି ହାତ ଉଠାଅ ନାହିଁ।” 23ଏଥିଉତ୍ତାରେ ଯୋଷେଫ ଭାଇମାନଙ୍କ ନିକଟକୁ ଆସନ୍ତେ, ସେମାନେ ତାହାର ଅଙ୍ଗରଖା, ସେହି ନାନା ବର୍ଣ୍ଣର ଅଙ୍ଗରଖା, ତାହା ଦେହରୁ କାଢ଼ିନେଇ; 24ତାକୁ ଧରି ଗର୍ତ୍ତ ମଧ୍ୟରେ ପକାଇଦେଲେ, ସେହି ଗର୍ତ୍ତ ଶୂନ୍ୟ, ତହିଁରେ ଜଳ ନ ଥିଲା। 25ତହୁଁ ସେମାନେ ଭୋଜନ କରିବାକୁ ବସିଲେ; ସେମାନେ ଅନାଇ ଦେଖିଲେ, ଯେ ଗିଲୀୟଦରୁ ଏକ ଦଳ ଇଶ୍ମାୟେଲୀୟ ପଥିକ ଓଟ ଉପରେ ସୁଗନ୍ଧି ଦ୍ରବ୍ୟ ଓ ଗୁଗ୍ଗୁଳ ଓ ଗନ୍ଧରସ ଘେନି ମିସର ଦେଶକୁ ଯାଉଅଛନ୍ତି। 26ସେତେବେଳେ ଯିହୁଦା ଭାଇମାନଙ୍କୁ କହିଲା, “ଆମ୍ଭମାନଙ୍କ ଭାଇକୁ ବଧ କରି ତାହାର ରକ୍ତ ଗୋପନ କଲେ, ଆମ୍ଭମାନଙ୍କର ଲାଭ କଅଣ? 27ଆସ, ଆମ୍ଭେମାନେ ତାକୁ ଏହି ଇଶ୍ମାୟେଲୀୟ ଲୋକମାନଙ୍କୁ ବିକ୍ରୟ କରିଦେଉ, ଆମ୍ଭମାନଙ୍କ ହସ୍ତ ତାହା ପ୍ରତିକୂଳରେ ନ ଉଠୁ; କାରଣ ସେ ଆମ୍ଭମାନଙ୍କ ଭ୍ରାତା ଓ ଆମ୍ଭମାନଙ୍କ ମାଂସ ସ୍ୱରୂପ।” ତହିଁରେ ତାହାର ଭାଇମାନେ ସମ୍ମତ ହେଲେ। 28ସେତେବେଳେ ସେହି ମିଦୀୟନୀୟ ବଣିକମାନେ ନିକଟକୁ ଆସନ୍ତେ, ସେମାନେ ଯୋଷେଫକୁ ଗର୍ତ୍ତ ମଧ୍ୟରୁ ଉପରକୁ ଟାଣି ଆଣିଲେ; ପୁଣି, ଇଶ୍ମାୟେଲୀୟମାନଙ୍କଠାରୁ କୋଡ଼ିଏ ଶେକେଲ ରୌପ୍ୟ ମୁଦ୍ରା ନେଇ ଯୋଷେଫକୁ ବିକ୍ରୟ କରିଦେଲେ; ତହିଁରେ ସେମାନେ ଯୋଷେଫକୁ ମିସର ଦେଶକୁ ନେଇଗଲେ।

ପ୍ରତିଉତ୍ତର ଗୀତ

ଗୀତ 105:16–21

16ଏଥିଉତ୍ତାରେ ସେ ଦେଶରେ ଦୁର୍ଭିକ୍ଷ ଆଜ୍ଞା କଲେ; ସେ ଭକ୍ଷ୍ୟରୂପ ସମଗ୍ର ଯଷ୍ଟି ଭଗ୍ନ କଲେ। 17ସେ ସେମାନଙ୍କ ଆଗରେ ଏକ ମନୁଷ୍ୟକୁ ପଠାଇଲେ; ଯୋଷେଫ ଦାସ ହେବା ପାଇଁ ବିକ୍ରୀତ ହେଲା; 18ସେମାନେ ବେଡ଼ିରେ ତାହାର ଚରଣକୁ ଦୁଃଖ ଦେଲେ; ସେ ଲୌହ ଶୃଙ୍ଖଳରେ ରଖାଗଲା; 19ଶେଷରେ ତାହାର ବଚନ ସଫଳ ହେଲା; ସଦାପ୍ରଭୁଙ୍କ ବାକ୍ୟ ତାହାକୁ ପରୀକ୍ଷା କଲା। 20ତହୁଁ ରାଜା ଲୋକ ପଠାଇ ତାହାକୁ ମୁକ୍ତ କଲା; ନରପତି ତାହାକୁ ମୁକ୍ତ କରି ଛାଡ଼ିଦେଲା। 21ସେ ଆପଣାର ଅଧିପତିମାନଙ୍କୁ ଇଚ୍ଛାନୁସାରେ ବନ୍ଧନ କରିବା ପାଇଁ ଓ ଆପଣାର ମନ୍ତ୍ରୀମାନଙ୍କୁ ଜ୍ଞାନ ଶିକ୍ଷା ଦେବା ପାଇଁ;

ସୁସମାଚାର

ମାଥି 21:33–43, 45–46

33“ଆଉ ଗୋଟିଏ ଦୃଷ୍ଟାନ୍ତ ଶୁଣ। ଜଣେ ଗୃହକର୍ତ୍ତା ଥିଲେ, ସେ ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ଚାରିଆଡ଼େ ବାଡ଼ ଦେଲେ ଓ ତହିଁ ମଧ୍ୟରେ ଦ୍ରାକ୍ଷାକୁଣ୍ଡ ଖୋଳି ପ୍ରହରୀ-ଗୃହ ତିଆରି କଲେ, ପୁଣି, କୃଷକମାନଙ୍କୁ ସେହି କ୍ଷେତ୍ର ଭାଗରେ ଦେଇ ବିଦେଶକୁ ଚାଲିଗଲେ। 34ପରେ ଫଳର ସମୟ ପାଖେଇ ଆସନ୍ତେ ସେ ଆପଣା ଫଳ ପାଇବା ପାଇଁ କୃଷକମାନଙ୍କ ପାଖକୁ ନିଜ ଦାସମାନଙ୍କୁ ପଠାଇଲେ। 35କିନ୍ତୁ କୃଷକମାନେ ତାହାଙ୍କ ଦାସମାନଙ୍କୁ ଧରି ଜଣକୁ ପ୍ରହାର କଲେ, ଅନ୍ୟ ଜଣକୁ ବଧ କଲେ, ପୁଣି, ଆଉ ଜଣକୁ ପଥର ଫୋପାଡ଼ି ମାରିପକାଇଲେ। 36ପୁଣି, ଥରେ ସେ ପ୍ରଥମ ଥର ଅପେକ୍ଷା ଅଧିକ ସଂଖ୍ୟକ ଦାସ ପଠାଇଲେ, ଆଉ ସେମାନେ ସେମାନଙ୍କ ପ୍ରତି ସେହି ପ୍ରକାର କଲେ। 37‘କିନ୍ତୁ ମୋହର ପୁଅକୁ ସେମାନେ ମାନ୍ୟ କରିବେ,’ ଏହା କହି ସେ ପରେ ଆପଣା ପୁତ୍ରକୁ ସେମାନଙ୍କ ନିକଟକୁ ପଠାଇଲେ। 38ମାତ୍ର ସେହି କୃଷକମାନେ ପୁତ୍ରଙ୍କୁ ଦେଖି ପରସ୍ପର କହିଲେ, ‘ଏ ତ ଉତ୍ତରାଧିକାରୀ; ଆସ, ଏହାକୁ ମାରି ଦେଇ ଆମ୍ଭେମାନେ ଏହାର ଅଧିକାର ଦଖଲ କରୁ।’ 39ଆଉ ସେମାନେ ତାହାଙ୍କୁ ଧରି ଦ୍ରାକ୍ଷାକ୍ଷେତ୍ରର ବାହାରେ ପକାଇ ମାରିଦେଲେ। 40ଅତଏବ ଯେତେବେଳେ ସେହି ଦ୍ରାକ୍ଷାକ୍ଷେତ୍ରର ମାଲିକ ଆସିବେ, ସେତେବେଳେ ସେହି କୃଷକମାନଙ୍କ ପ୍ରତି ସେ କଅଣ କରିବେ?” 41ସେମାନେ ତାହାଙ୍କୁ କହିଲେ, ସେ ସେହି ଦୁଷ୍ଟମାନଙ୍କୁ ନିଷ୍ଠୁର ଭାବରେ ବିନାଶ କରିବେ ଓ ଯେଉଁ ଅନ୍ୟ କୃଷକମାନେ ତାହାଙ୍କୁ ଠିକ୍ ସମୟରେ ଫଳ ଯୋଗାଇବେ, ସେମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଭାଗରେ ଦେବେ। 42ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ କି କେବେ ହେଁ ଧର୍ମଶାସ୍ତ୍ରରେ ଏହି କଥା ପାଠ କରି ନାହଁ, ‘ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା; ପ୍ରଭୁଙ୍କଠାରୁ ଏହା ହେଲା, ଆଉ ତାହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟଜନକ?’ 43ଏଣୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କଠାରୁ କାଢ଼ି ନିଆଯିବ, ପୁଣି, ଯେଉଁ ଜାତି ସେଥିର ଫଳ ଫଳିବ, ତାହାକୁ ଦିଆଯିବ। 45ପ୍ରଧାନ ଯାଜକ ଓ ଫାରୂଶୀମାନେ ତାହାଙ୍କର ଏହି ସମସ୍ତ ଦୃଷ୍ଟାନ୍ତ ଶୁଣି, ସେ ଯେ ସେମାନଙ୍କ ବିଷୟରେ କହୁଅଛନ୍ତି, ଏହା ବୁଝିଲେ। 46ଆଉ ସେମାନେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ଲୋକସମୂହକୁ ଭୟ କଲେ, କାରଣ ସେମାନେ ତାହାଙ୍କୁ ଭାବବାଦୀ ବୋଲି ମାନୁଥିଲେ।

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର