Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମାର୍ଚ୍ଚ 2027 › ମାର୍ଚ୍ଚ 2

ଅର୍ଥୋଡକ୍ସ ପଞ୍ଜିକା · 17 ଫେବୃଆରୀ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 2 ମାର୍ଚ୍ଚ 2027

ମଙ୍ଗଳବାର · ମାଂସ-ତ୍ୟାଗ ସପ୍ତାହ · ସ୍ୱର 6

ପର୍ବ ଓ ସନ୍ଥ

ମାଂସ-ତ୍ୟାଗ ସପ୍ତାହର ମଙ୍ଗଳବାର

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ପ୍ର. ଯୋହ 3:10–20

10ଏଥିରେ କିଏ ଈଶ୍ବରଙ୍କ ସନ୍ତାନ ଓ କିଏ ଶୟତାନର ସନ୍ତାନ, ଏହା ପ୍ରକାଶିତ ହୁଏ; ଯେ କେହି ଧର୍ମାଚରଣ କରେ ନାହିଁ, କିଅବା ଆପଣା ଭାଇକୁ ପ୍ରେମ କରେ ନାହିଁ, ସେ ଈଶ୍ବରଙ୍କଠାରୁ ଜାତ ନୁହେଁ। 11କାରଣ ଆମ୍ଭମାନଙ୍କର ଯେ ପରସ୍ପରକୁ ପ୍ରେମ କରିବା କର୍ତ୍ତବ୍ୟ, ଏହି ବାଣୀ ତୁମ୍ଭେମାନେ ଆଦ୍ୟରୁ ଶୁଣିଅଛ; 12ପାପାତ୍ମାର ସନ୍ତାନ ଯେ କୟିନ, ତାହା ପରି ହୁଅ ନାହିଁ, ସେ ଆପଣା ଭାଇକୁ ବଧ କଲା; ଆଉ ସେ ତାହାକୁ କାହିଁକି ବଧ କଲା? କାରଣ ଏହି ଯେ, ତାହାର କାର୍ଯ୍ୟ ପାପମୟ, ଆଉ ତାହାର ଭାଇର କାର୍ଯ୍ୟ ଧର୍ମମୟ ଥିଲା। 13ହେ ଭାଇମାନେ, ଜଗତ ତୁମ୍ଭମାନଙ୍କୁ ଘୃଣା କଲେ, ଆଶ୍ଚର୍ଯ୍ୟଜ୍ଞାନ କର ନାହିଁ। 14ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛୁ, ଯେଣୁ ଆମ୍ଭେମାନେ ଭାଇମାନଙ୍କୁ ପ୍ରେମ କରୁଅଛୁ। ଯେ ପ୍ରେମ କରେ ନାହିଁ, ସେ ମୃତ୍ୟୁର ଅଧୀନରେ ଥାଏ। 15ଯେ କେହି ଆପଣା ଭାଇକୁ ଘୃଣା କରେ, ସେ ନରଘାତକ; ଆଉ ନରଘାତକଠାରେ ଯେ ଅନନ୍ତ ଜୀବନ ନ ଥାଏ, ଏହା ତୁମ୍ଭେମାନେ ଜାଣ। 16ସେ ଆମ୍ଭମାନଙ୍କ ନିମନ୍ତେ ଆପଣା ପ୍ରାଣ ଦାନ କରିବା ଦ୍ୱାରା ଆମ୍ଭେମାନେ ପ୍ରେମର ପରିଚୟ ପାଇଅଛୁ; ପୁଣି, ଭାଇମାନଙ୍କ ନିମନ୍ତେ ଆମ୍ଭମାନଙ୍କର ମଧ୍ୟ ପ୍ରାଣ ଦାନ କରିବା ଉଚିତ। 17କିନ୍ତୁ ଯେ ସଂସାର ଅନୁସାରେ ଧନଶାଳୀ ହୋଇ ଆପଣା ଭାଇକୁ ଅଭାବଗ୍ରସ୍ତ ଦେଖିଲେ ହେଁ ତାହା ପ୍ରତି ଆପଣା ଦୟା ରୁଦ୍ଧ କରେ, ତାହାଠାରେ ଈଶ୍ବରଙ୍କ ପ୍ରେମ କିପରି ରହିପାରେ? 18ହେ ବତ୍ସଗଣ, ଆସ, ଆମ୍ଭେମାନେ ବାକ୍ୟରେ କି ଜିହ୍ୱାରେ ପ୍ରେମ ନ କରି କାର୍ଯ୍ୟରେ ଓ ସତ୍ୟରେ ପ୍ରେମ କରୁ। 19ତାହା କଲେ, ଆମ୍ଭେମାନେ ଯେ ସତ୍ୟର ସନ୍ତାନ, ଏହା ଜାଣିବା, 20ପୁଣି, ଯେକୌଣସି ବିଷୟରେ ଆମ୍ଭମାନଙ୍କ ହୃଦୟ ଆମ୍ଭମାନଙ୍କୁ ଦୋଷୀ କରେ, ସେ ବିଷୟରେ ତଦ୍ୱାରା ତାହାଙ୍କ ଛାମୁରେ ଆପଣାମାନଙ୍କର ହୃଦୟ ସୁସ୍ଥିର କରିପାରିବା; କାରଣ ଈଶ୍ବର ଆମ୍ଭମାନଙ୍କ ହୃଦୟଠାରୁ ମହାନ ଓ ସେ ସବୁ ଜାଣନ୍ତି।

ସୁସମାଚାର

ମାର୍କ 14:10–42

10ସେଥିରେ ବାର ଶିଷ୍ୟମାନଙ୍କ ମଧ୍ୟରୁ ଇଷ୍କାରିୟୋତୀୟ ଯିହୂଦା ନାମକ ଜଣେ ଯୀଶୁଙ୍କୁ ପ୍ରଧାନ ଯାଜକମାନଙ୍କ ହସ୍ତରେ ସମର୍ପଣ କରିବା ନିମନ୍ତେ ସେମାନଙ୍କ ନିକଟକୁ ଗଲା। 11ସେମାନେ ତାହା ଶୁଣି ଆନନ୍ଦିତ ହେଲେ ଓ ତାହାଙ୍କୁ ଟଙ୍କା ଦେବା ପାଇଁ ପ୍ରତିଜ୍ଞା କଲେ। ସେଥିରେ ସେ ତାହାଙ୍କୁ ସୁବିଧା ଅନୁସାରେ କିପରି ଧରାଇଦେଇ ପାରେ, ଏହା ଅନ୍ୱେଷଣ କରିବାକୁ ଲାଗିଲା। 12ପରେ ଖମୀରଶୂନ୍ୟ ରୁଟି ପର୍ବର ପ୍ରଥମ ଦିନରେ, ଯେଉଁ ଦିନ ନିସ୍ତାର ପର୍ବର ମେଷଶାବକ ବଳିଦାନ କରାଯାଏ, ସେହି ଦିନ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ପଚାରିଲେ, ଆମ୍ଭେମାନେ ଯାଇ କେଉଁ ସ୍ଥାନରେ ଆପଣଙ୍କ ନିମନ୍ତେ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କରିବୁ ବୋଲି ଆପଣ ଇଚ୍ଛା କରନ୍ତି? 13ସେଥିରେ ସେ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣକୁ ଏହା କହି ପଠାଇଲେ, “ତୁମ୍ଭେମାନେ ନଗରକୁ ଯାଅ, ଆଉ ଜଳକୁମ୍ଭ ଘେନି ଯାଉଥିବା ଜଣେ ଲୋକ ତୁମ୍ଭମାନଙ୍କୁ ଭେଟିବ; ତାହାର ପଛେ ପଛେ ଯାଅ; 14ସେ ଯେଉଁ ଗୃହରେ ପ୍ରବେଶ କରିବ, ସେହି ଗୃହର କର୍ତ୍ତାଙ୍କୁ କୁହ, ଗୁରୁ ପଚାରୁଅଛନ୍ତି, ମୁଁ ମୋହର ଶିଷ୍ୟମାନଙ୍କ ସହିତ ଯେଉଁଠାରେ ନିସ୍ତାର ପର୍ବର ଭୋଜ ପାଳନ କରିବି, ମୋହର ସେହି ଅତିଥିଶାଳା କାହିଁ? 15ସେଥିରେ ସେ ତୁମ୍ଭମାନଙ୍କୁ ସୁସଜ୍ଜିତ ଓ ପ୍ରସ୍ତୁତ ଗୋଟିଏ ଉପରିସ୍ଥ ବୃହତ କୋଠରୀ ଦେଖାଇଦେବେ; ସେ ସ୍ଥାନରେ ଆମ୍ଭମାନଙ୍କ ପାଇଁ ପ୍ରସ୍ତୁତ କର।” 16ତହିଁରେ ଶିଷ୍ୟମାନେ ପ୍ରସ୍ଥାନ କରି ନଗରରେ ପ୍ରବେଶ କଲେ, ପୁଣି, ଯୀଶୁ ସେମାନଙ୍କୁ ଯେପରି କହିଥିଲେ, ସେହିପରି ଦେଖି ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କଲେ। 17ସନ୍ଧ୍ୟା ହୁଅନ୍ତେ ସେ ବାର ଶିଷ୍ୟଙ୍କ ସହିତ ଆସିଲେ। 18ସେମାନେ ବସି ଭୋଜନ କରୁଥିବା ସମୟରେ ଯୀଶୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ଯେ କି ମୋʼ ସାଙ୍ଗରେ ଭୋଜନ କରୁଅଛି, ସେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ।” 19ସେଥିରେ ଶିଷ୍ୟମାନେ ଦୁଃଖିତ ହୋଇ ଜଣ ଜଣ କରି ତାହାଙ୍କୁ ପଚାରିବାକୁ ଲାଗିଲେ, ସେ କଅଣ ମୁଁ? 20ଯୀଶୁ ସେମାନଙ୍କୁ କହିଲେ, “ବାରଜଣଙ୍କ ମଧ୍ୟରୁ ଜଣେ, ଯେ କି ମୋʼ ସହିତ ପାତ୍ରରେ ହାତ ବୁଡ଼ାଉଅଛି। 21ମନୁଷ୍ୟପୁତ୍ରଙ୍କ ବିଷୟରେ ଯେପରି ଲେଖାଅଛି, ସେହିପରି ସେ ଯାଉଅଛନ୍ତି ସତ୍ୟ, କିନ୍ତୁ ଯେଉଁ ଲୋକ ଦ୍ୱାରା ମନୁଷ୍ୟପୁତ୍ର ଶତ୍ରୁ ହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ଡର ପାତ୍ର! ସେହି ଲୋକ ଜନ୍ମ ହୋଇ ନ ଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା।” 22ସେମାନେ ଭୋଜନ କରୁଥିବା ସମୟରେ ଯୀଶୁ ରୁଟି ଘେନି ଆଶୀର୍ବାଦ କଲେ ଓ ତାହା ଭାଙ୍ଗି ସେମାନଙ୍କୁ ଦେଇ କହିଲେ, “ନିଅ, ଏହା ମୋହର ଶରୀର।” 23ପୁଣି, ସେ ପାନପାତ୍ର ଘେନି ଧନ୍ୟବାଦ ଦେଇ ଶିଷ୍ୟମାନଙ୍କୁ ଦେଲେ ଓ ସମସ୍ତେ ସେଥିରୁ ପାନ କଲେ। 24ଆଉ, ଯୀଶୁ ସେମାନଙ୍କୁ କହିଲେ, “ଯେଉଁ ନିୟମର ରକ୍ତ ଅନେକଙ୍କ ନିମନ୍ତେ ଢାଳି ଦିଆଯାଏ, ଏ ମୋହର ସେହି ରକ୍ତ। 25ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଦିନ ମୁଁ ଈଶ୍ବରଙ୍କ ରାଜ୍ୟରେ ନୂଆ କରି ଦ୍ରାକ୍ଷାଫଳର ରସ ପାନ କରିବି, ସେହି ଦିନ ପର୍ଯ୍ୟନ୍ତ ଏହା ଆଉ କେବେ ହେଁ ପାନ କରିବି ନାହିଁ।” 26ପୁଣି, ସେମାନେ ସ୍ତବଗାନ କଲା ଉତ୍ତାରେ ଜୀତପର୍ବତକୁ ବାହାରିଗଲେ। 27ସେତେବେଳେ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସମସ୍ତେ ବିଘ୍ନ ପାଇବ, କାରଣ ଲେଖାଅଛି, ‘ଆମ୍ଭେ ମେଷପାଳକକୁ ପ୍ରହାର କରିବା, ଆଉ ମେଷଗୁଡ଼ିକ ଛିନ୍ନଭିନ୍ନ ହୋଇଯିବେ।’ 28କିନ୍ତୁ ମୁଁ ଉତ୍ଥିତ ହେବା ପରେ ତୁମ୍ଭମାନଙ୍କ ଆଗେ ଗାଲିଲୀକୁ ଯିବି।” 29ମାତ୍ର ପିତର ତାହାଙ୍କୁ କହିଲେ, ଯଦ୍ୟପି ସମସ୍ତେ ବିଘ୍ନ ପାଇବେ, ତଥାପି ମୁଁ ପାଇବି ନାହିଁ। 30ଯୀଶୁ ତାହାଙ୍କୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଆଜି ଏହି ରାତିରେ କୁକୁଡ଼ା ଦ୍ୱିତୀୟ ଥର ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ।” 31କିନ୍ତୁ ପିତର ଦୃଢ଼ରୂପେ କହିବାକୁ ଲାଗିଲେ, ଯଦି ମୋତେ ଆପଣଙ୍କ ସାଙ୍ଗରେ ମରିବାକୁ ହୁଏ, ତଥାପି ମୁଁ ଆପଣଙ୍କୁ କେବେ ହେଁ ଅସ୍ୱୀକାର କରିବି ନାହିଁ। ପୁଣି, ସମସ୍ତେ ମଧ୍ୟ ସେହି ପ୍ରକାର କହିଲେ। 32ପରେ ସେମାନେ ଗେଥ୍‌ଶିମାନୀ ନାମକ ଗୋଟିଏ ସ୍ଥାନକୁ ଆସିଲେ, ଆଉ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, “ମୁଁ ପ୍ରାର୍ଥନା କରୁଥିବା ପର୍ଯ୍ୟନ୍ତ ତୁମ୍ଭେମାନେ ଏଠାରେ ବସିଥାଅ।” 33ପୁଣି, ସେ ପିତର, ଯାକୁବ ଓ ଯୋହନଙ୍କୁ ସାଙ୍ଗରେ ଘେନି ଅତ୍ୟନ୍ତ ବିସ୍ମୟାନ୍ୱିତ ଓ ବ୍ୟାକୁଳ ହେବାକୁ ଲାଗିଲେ। 34ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ମୋହର ପ୍ରାଣ ମୃତ୍ୟୁଭୋଗ କରିବା ପରି ଅତ୍ୟନ୍ତ ଶୋକାକୁଳ ହେଉଅଛି; ତୁମ୍ଭେମାନେ ଏଠାରେ ରହି ଜାଗିଥାଅ।” 35ପୁଣି, ଯୀଶୁ ଅଳ୍ପ ଦୂର ଆଗକୁ ଯାଇ ଭୂମିରେ ପଡ଼ି, ଯଦି ହୋଇପାରେ, ସେହି ସମୟ ତାହାଙ୍କଠାରୁ ଯେପରି ଦୂର ହୁଏ, ଏଥିନିମନ୍ତେ ପ୍ରାର୍ଥନା କରିବାକୁ ଲାଗିଲେ। 36ଆଉ ଯୀଶୁ କହିଲେ, “ଆବ୍ବା, ପିତଃ, ସମସ୍ତ ତୁମ୍ଭର ସାଧ୍ୟ; ଏହି ପାନପାତ୍ର ମୋʼଠାରୁ ଦୂର କର; ତଥାପି ମୋହର ଇଚ୍ଛା ନୁହେଁ, ମାତ୍ର ତୁମ୍ଭର ଇଚ୍ଛା।” 37ପୁଣି, ସେ ଆସି ଶିଷ୍ୟମାନଙ୍କୁ ନିଦ୍ରିତ ଦେଖିଲେ ଓ ପିତରଙ୍କୁ କହିଲେ, “ଶିମୋନ, ତୁମ୍ଭେ କଅଣ ଶୋଇପଡ଼ିଲ? ଘଣ୍ଟାଏ ହେଲେ ଜାଗି ପାରିଲ ନାହିଁ? 38ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଜାଗି ରହି ପ୍ରାର୍ଥନା କର; ଆତ୍ମା ଇଚ୍ଛୁକ ସତ୍ୟ, ମାତ୍ର ଶରୀର ଦୁର୍ବଳ।” 39ସେ ପୁନର୍ବାର ଯାଇ ପୂର୍ବ ପରି କଥା କହି ପ୍ରାର୍ଥନା କଲେ। 40ପୁନଶ୍ଚ ସେ ଆସି ସେମାନଙ୍କୁ ନିଦ୍ରିତ ଦେଖିଲେ, କାରଣ ସେମାନଙ୍କ ଆଖି ମାଡ଼ିପଡ଼ୁଥିଲା, ଆଉ ସେମାନେ ତାହାଙ୍କୁ କି ଉତ୍ତର ଦେବେ, ତାହା ଜାଣି ନ ଥିଲେ। 41ଯୀଶୁ ତୃତୀୟ ଥର ଆସି ଶିଷ୍ୟମାନଙ୍କୁ କହିଲେ, “ଅଳ୍ପ କ୍ଷଣ ଶୟନ କରି ବିଶ୍ରାମ କର; ଯଥେଷ୍ଟ ହେଲାଣି; ସେହି ସମୟ ଉପସ୍ଥିତ; ଦେଖ, ମନୁଷ୍ୟପୁତ୍ର ପାପୀମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି। 42ଉଠ, ଆମ୍ଭେମାନେ ଯିବା, ଦେଖ, ଯେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରୁଅଛି, ସେ ନିକଟବର୍ତ୍ତୀ।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଫେବୃଆରୀ 17 ନାଗରିକ ପଞ୍ଜିକାର ମାର୍ଚ୍ଚ 2। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର