ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମାର୍ଚ୍ଚ 2027 › ମାର୍ଚ୍ଚ 10
ଅର୍ଥୋଡକ୍ସ ପଞ୍ଜିକା · 25 ଫେବୃଆରୀ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 10 ମାର୍ଚ୍ଚ 2027
ବୁଧବାର · ପନିର-ତ୍ୟାଗ ସପ୍ତାହ · ସ୍ୱର 7
ପର୍ବ ଓ ସନ୍ଥ
ପନିର-ତ୍ୟାଗ ସପ୍ତାହର ବୁଧବାର
ପନିର ସପ୍ତାହ
ମାଂସ ନାହିଁ; ଦୁଗ୍ଧଜାତ, ଅଣ୍ଡା ଓ ମାଛ ଚଳିବ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ଷଷ୍ଠ ଘଣ୍ଟା
12ତଥାପି ସଦାପ୍ରଭୁ କହନ୍ତି, “ଏବେ ହେଁ ତୁମ୍ଭେମାନେ ଉପବାସ, ରୋଦନ ଓ ବିଳାପ କରି ଆପଣାମାନଙ୍କର ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସ। 13ପୁଣି, ଆପଣା ଆପଣା ବସ୍ତ୍ର ନ ଚିରି ଅନ୍ତଃକରଣ ଚିର” ଓ ସଦାପ୍ରଭୁ ଆପଣାମାନଙ୍କର ପରମେଶ୍ୱରଙ୍କ ନିକଟକୁ ଫେରି ଆସ; କାରଣ ସେ କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ, ଆଉ ସେ ଅମଙ୍ଗଳ କରିବା ବିଷୟରେ କ୍ଷାନ୍ତ ହୁଅନ୍ତି। 14କେଜାଣି ସେ ଫେରି ଦୁଃଖିତ ହେବେ ଓ ଆପଣା ପଶ୍ଚାତ୍ ଆଶୀର୍ବାଦ, ଅର୍ଥାତ୍, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ରଖିଯିବେ। 15ସିୟୋନରେ ତୂରୀ ବଜାଅ ଓ ପବିତ୍ର ଉପବାସ ନିରୂପଣ କର, ମହାସଭା ଆହ୍ୱାନ କର; 16ଲୋକମାନଙ୍କୁ ଏକତ୍ର କର, ପବିତ୍ର ସମାଜ ନିରୂପଣ କର, ପ୍ରାଚୀନମାନଙ୍କୁ ସଂଗ୍ରହ କର, ବାଳକ, ବାଳିକାମାନଙ୍କୁ ଓ ଦୁଗ୍ଧପୋଷ୍ୟ ଶିଶୁମାନଙ୍କୁ ଏକତ୍ର କର; ବର ଆପଣା ଶୟନ ଗୃହରୁ ଓ କନ୍ୟା ଆପଣା ଅନ୍ତଃପୁରରୁ ବାହାର ହେଉ। 17ବରଣ୍ଡା ଓ ବେଦିର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କର ପରିଚାରକ ଯାଜକମାନେ ରୋଦନ କରନ୍ତୁ, ଆଉ ସେମାନେ କହନ୍ତୁ, “ହେ ସଦାପ୍ରଭୁ, ଆପଣା ଲୋକମାନଙ୍କୁ ଦୟା କର ଓ ଅନ୍ୟ ଦେଶୀୟମାନେ ଯେପରି ସେମାନଙ୍କ ଉପରେ ଶାସନ ନ କରିବେ, ଏଥିପାଇଁ ଆପଣା ଅଧିକାରକୁ ନିନ୍ଦିତ ହେବାକୁ ଦିଅ ନାହିଁ; ‘ସେମାନଙ୍କର ପରମେଶ୍ୱର କାହାନ୍ତି,’ ଏହା ସେମାନେ ନାନା ଗୋଷ୍ଠୀ ମଧ୍ୟରେ କାହିଁକି କହିବେ?” 18ସେତେବେଳେ ସଦାପ୍ରଭୁ ଆପଣା ଦେଶ ପାଇଁ ଉଦ୍ଯୋଗୀ ହେଲେ ଓ ଆପଣା ଲୋକମାନଙ୍କ ପ୍ରତି ଦୟା କଲେ। 19ପୁଣି, ସଦାପ୍ରଭୁ ଆପଣା ଲୋକମାନଙ୍କୁ ଉତ୍ତର ଦେଇ କହିଲେ, “ଦେଖ, ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ପଠାଇଦେବା, ଆଉ ତୁମ୍ଭେମାନେ ତହିଁରେ ତୃପ୍ତ ହେବ; ପୁଣି, ଆମ୍ଭେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଆଉ ନିନ୍ଦାର ପାତ୍ର କରିବା ନାହିଁ। 20ମାତ୍ର ଆମ୍ଭେ ତୁମ୍ଭମାନଙ୍କ ନିକଟରୁ ଉତ୍ତର ଦେଶୀୟ ସୈନ୍ୟଦଳକୁ ଦୂର କରିବା, ପୁଣି ସେମାନଙ୍କୁ ଶୁଷ୍କ ଓ ଧ୍ୱଂସିତ ଦେଶକୁ ତଡ଼ିଦେଇ ସେମାନଙ୍କର ଅଗ୍ରଭାଗ ପୂର୍ବ ସମୁଦ୍ର ଆଡ଼େ, ଆଉ ସେମାନଙ୍କର ପଶ୍ଚାଦ୍ଭାଗ ପଶ୍ଚିମ ସମୁଦ୍ର ଆଡ଼େ ତଡ଼ିଦେବା; ତହିଁରେ ସେମାନଙ୍କର ଦୁର୍ଗନ୍ଧ ଉଠିବ ଓ କୁବାସ ନିର୍ଗତ ହେବ, କାରଣ ସେ ମହତ୍ କର୍ମମାନ କରିଅଛନ୍ତି। 21ହେ ଦେଶ, ଭୟ କର ନାହିଁ, ଉଲ୍ଲସିତ ହୋଇ ଆନନ୍ଦ କର; କାରଣ ସଦାପ୍ରଭୁ ମହତ୍ କର୍ମମାନ କରିଅଛନ୍ତି। 22ହେ କ୍ଷେତ୍ରସ୍ଥ ପଶୁଗଣ, ତୁମ୍ଭେମାନେ ଭୟ କର ନାହିଁ; କାରଣ ପ୍ରାନ୍ତରସ୍ଥ ଚରାଣି ସ୍ଥାନସବୁ ଅଙ୍କୁରିତ ହେଉଅଛି, ବୃକ୍ଷ ଫଳ ଫଳୁଅଛି, ଡିମ୍ବିରିବୃକ୍ଷ ଓ ଦ୍ରାକ୍ଷାଲତା ଆପଣା ଶକ୍ତି ପ୍ରକାଶ କରୁଅଛି। 23ଏଥିପାଇଁ ହେ ସିୟୋନର ସନ୍ତାନଗଣ, ତୁମ୍ଭେମାନେ ଉଲ୍ଲସିତ ହୁଅ ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଆନନ୍ଦ କର; କାରଣ ସେ ତୁମ୍ଭମାନଙ୍କୁ ଯଥା ପରିମାଣରେ ଆଦ୍ୟ ବୃଷ୍ଟି ଦିଅନ୍ତି ଓ ସେ ତୁମ୍ଭମାନଙ୍କ ନିମନ୍ତେ ବୃଷ୍ଟି ବର୍ଷାନ୍ତି, ଆଦ୍ୟ ବୃଷ୍ଟି ଓ ଶେଷ ବୃଷ୍ଟି ପ୍ରଥମ ମାସରେ। 24ପୁଣି, ତୁମ୍ଭମାନଙ୍କର ଖଳାସବୁ ଗହମରେ ପରିପୂର୍ଣ୍ଣ ହେବ ଓ କୁଣ୍ଡସବୁ ଦ୍ରାକ୍ଷାରସ ଓ ତୈଳରେ ଉଚ୍ଛୁଳି ପଡ଼ିବ। 25ଆଉ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ଆପଣାର ଯେଉଁ ମହାସୈନ୍ୟଦଳ, ଅର୍ଥାତ୍ ପଙ୍ଗପାଳ, ପତଙ୍ଗ, ଘୁର୍ଘୁରିଆ ଓ ଶୂକ କୀଟ ପଠାଇଲୁ, ସେମାନେ ଯେଉଁ ବର୍ଷର ଶସ୍ୟାଦି ଖାଇଅଛନ୍ତି, ତାହା ଆମ୍ଭେ ତୁମ୍ଭମାନଙ୍କୁ ଫେରାଇ ଦେବା। 26ତହିଁରେ ତୁମ୍ଭେମାନେ ପ୍ରଚୁର ରୂପେ ଭୋଜନ କରି ପରିତୃପ୍ତ ହେବ ଓ ଯେ ତୁମ୍ଭମାନଙ୍କ ପ୍ରତି ଆଶ୍ଚର୍ଯ୍ୟ ବ୍ୟବହାର କରିଅଛନ୍ତି, ତୁମ୍ଭେମାନେ ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନାମର ପ୍ରଶଂସା କରିବ ଓ ଆମ୍ଭର ଲୋକମାନେ କଦାପି ଲଜ୍ଜିତ ହେବେ ନାହିଁ।
ସନ୍ଧ୍ୟା ପ୍ରାର୍ଥନା: ପାଠ
12ଗୋଷ୍ଠୀବର୍ଗ ଉଦ୍ଯୋଗୀ ହୋଇ ଉଠନ୍ତୁ ଓ ଯିହୋଶାଫଟ୍ର ଉପତ୍ୟକାକୁ ଆସନ୍ତୁ; କାରଣ ସେସ୍ଥାନରେ ଆମ୍ଭେ ଚତୁର୍ଦ୍ଦିଗସ୍ଥ ସକଳ ଗୋଷ୍ଠୀର ବିଚାର କରିବା ପାଇଁ ବସିବା। 13ତୁମ୍ଭେମାନେ ଦାʼ ଲଗାଅ କାରଣ ଶସ୍ୟ ପାଚିଅଛି; ତୁମ୍ଭେମାନେ ଆସି ଦଳନ କର; କାରଣ ଦ୍ରାକ୍ଷାଯନ୍ତ୍ର ପୂର୍ଣ୍ଣ ହୋଇଅଛି, କୁଣ୍ଡସବୁ ଉଚ୍ଛୁଳି ପଡ଼ୁଅଛି; କାରଣ ସେମାନଙ୍କର ଦୁଷ୍ଟତା ବଡ଼। 14ଦଣ୍ଡାଜ୍ଞାର ଉପତ୍ୟକାରେ ଲୋକାରଣ୍ୟ, ଲୋକାରଣ୍ୟ! କାରଣ ଦଣ୍ଡାଜ୍ଞାର ଉପତ୍ୟକାରେ ସଦାପ୍ରଭୁଙ୍କର ଦିନ ସନ୍ନିକଟ ହୋଇଅଛି। 15ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୋଇଅଛନ୍ତି ଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରୁଅଛନ୍ତି। 16ପୁଣି, ସଦାପ୍ରଭୁ ସିୟୋନରୁ ଗର୍ଜ୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; ତହିଁରେ ଆକାଶମଣ୍ଡଳ ଓ ପୃଥିବୀ କମ୍ପିତ ହେବେ; ମାତ୍ର ସଦାପ୍ରଭୁ ଆପଣା ଲୋକମାନଙ୍କ ପ୍ରତି ଆଶ୍ରୟ ହେବେ ଓ ଇସ୍ରାଏଲ-ସନ୍ତାନଗଣ ପ୍ରତି ଦୃଢ଼ ଦୁର୍ଗ ହେବେ। 17ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ଓ ଆପଣା ପବିତ୍ର ପର୍ବତ ସିୟୋନରେ ବାସ କରୁ, ଏହା ତୁମ୍ଭେମାନେ ଜାଣିବ; ତହିଁରେ ଯିରୂଶାଲମ ପବିତ୍ର ହେବ ଓ ବିଦେଶୀୟମାନେ ତହିଁ ମଧ୍ୟଦେଇ ଆଉ ଗମନାଗମନ କରିବେ ନାହିଁ। 18ସେଦିନ ପର୍ବତଗଣ ମିଷ୍ଟ ଦ୍ରାକ୍ଷାରସ ଝରାଇବେ, ଉପପର୍ବତଗଣ ଦୁଗ୍ଧରେ ପ୍ରବାହିତ ହେବେ ଓ ଯିହୁଦାର ନଦୀ ସ୍ରୋତସକଳ ଜଳରେ ପ୍ରବାହିତ ହେବେ; ପୁଣି, ସଦାପ୍ରଭୁଙ୍କ ଗୃହରୁ ଏକ ନିର୍ଝର ନିର୍ଗତ ହେବ, ତାହା ଶିଟୀମର ଉପତ୍ୟକାକୁ ଜଳମୟ କରିବ। 19ଯିହୁଦାର ସନ୍ତାନଗଣ ପ୍ରତି କୃତ ଉପଦ୍ରବ ସକାଶୁ ମିସର ଧ୍ୱଂସସ୍ଥାନ ହେବ ଓ ଇଦୋମ ଧ୍ୱଂସିତ ପ୍ରାନ୍ତର ହେବ, କାରଣ ସେମାନେ ଆପଣାମାନଙ୍କ ଦେଶରେ ନିର୍ଦ୍ଦୋଷର ରକ୍ତପାତ କରିଅଛନ୍ତି। 20ମାତ୍ର ଯିହୁଦା ଚିରକାଳ ଓ ଯିରୂଶାଲମ ପୁରୁଷାନୁକ୍ରମେ ରହିବ। 21ପୁଣି, ଆମ୍ଭେ ସେମାନଙ୍କର ଯେଉଁ ରକ୍ତକୁ ନିର୍ଦ୍ଦୋଷ କରି ନାହୁଁ, ତାହା ନିର୍ଦ୍ଦୋଷ କରିବା। କାରଣ ସଦାପ୍ରଭୁ ସିୟୋନରେ ବାସ କରନ୍ତି।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଫେବୃଆରୀ 25 ନାଗରିକ ପଞ୍ଜିକାର ମାର୍ଚ୍ଚ 10। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର