Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମାର୍ଚ୍ଚ 2027 › ମାର୍ଚ୍ଚ 14

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 14 ମାର୍ଚ୍ଚ 2027

ରବିବାର · ଉପବାସ କାଳର ପଞ୍ଚମ ସପ୍ତାହ

ପର୍ବ ଓ ସନ୍ଥ

ଉପବାସ କାଳର ପଞ୍ଚମ ରବିବାର

ରବିବାର · ଉପାସନାର ରଙ୍ଗ: ବାଇଗଣୀ

ଦିନର ପାଠ

ପ୍ରଥମ ପାଠ

ଯିରି 31:31–34

31ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ସହିତ ଏକ ନୂତନ ନିୟମ ସ୍ଥାପନ କରିବା, ଏପରି ସମୟ ଆସୁଅଛି; 32ମିସର ଦେଶରୁ ସେମାନଙ୍କର ପୂର୍ବପୁରୁଷଗଣକୁ ବାହାର କରି ଆଣିବା ନିମନ୍ତେ ଆମ୍ଭେ ସେମାନଙ୍କର ହସ୍ତ ଧରିବା ଦିନ ସେମାନଙ୍କ ସହିତ ଆମ୍ଭର କୃତ ନିୟମାନୁସାରେ ନୁହେଁ, ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କ ସ୍ୱାମୀ ହେଲେ ହେଁ ସେମାନେ ଆମ୍ଭର ସେହି ନିୟମ ଲଙ୍ଘନ କଲେ। 33ମାତ୍ର ସଦାପ୍ରଭୁ କହନ୍ତି, ସେହି ସକଳ ଦିନର ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଏହି ନିୟମ ସ୍ଥିର କରିବା; ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ; 34ପୁଣି, ତୁମ୍ଭେମାନେ ପରମେଶ୍ୱରଙ୍କୁ ଜ୍ଞାତ ହୁଅ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକୁ ଓ ପ୍ରତ୍ୟେକେ ଆପଣା ଆପଣା ଭ୍ରାତାକୁ ଆଉ ଶିକ୍ଷା ଦେବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ସେମାନଙ୍କର କ୍ଷୁଦ୍ରତମଠାରୁ ମହତ୍ତମ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜ୍ଞାତ ହେବେ; ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।”

ପ୍ରତିଉତ୍ତର ଗୀତ

ଗୀତ 51:1–2, 10–13

1ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ଦାଉଦ ବତ୍‍ଶେବାଠାରେ ଗମନ କଲା ଉତ୍ତାରେ ତାଙ୍କ ନିକଟକୁ ନାଥନ ଭବିଷ୍ୟଦ୍‍ବକ୍ତା ଆସିବା ସମୟରେ ରଚିତ। ହେ ପରମେଶ୍ୱର, ଆପଣା ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋʼ ପ୍ରତି ଦୟା କର; ତୁମ୍ଭ କୃପାର ବାହୁଲ୍ୟ ଅନୁସାରେ ମୋହର ଅଧର୍ମ ମାର୍ଜନା କର। 2ମୋʼ ଅପରାଧରୁ ମୋତେ ସମ୍ପୂର୍ଣ୍ଣ ପ୍ରକ୍ଷାଳନ କର ଓ ମୋʼ ପାପରୁ ମୋତେ ଶୁଚି କର। 10ହେ ପରମେଶ୍ୱର, ମୋʼ ଅନ୍ତରରେ ଶୁଚି ଅନ୍ତଃକରଣ ସୃଷ୍ଟି କର ଓ ମୋʼ ମଧ୍ୟରେ ସୁସ୍ଥିର ଆତ୍ମା ନୂତନ କର। 11ତୁମ୍ଭ ଛାମୁରୁ ମୋତେ ଦୂର କର ନାହିଁ ଓ ତୁମ୍ଭ ପବିତ୍ର ଆତ୍ମା ମୋʼ ଠାରୁ ନିଅ ନାହିଁ। 12ତୁମ୍ଭ ପରିତ୍ରାଣର ଆନନ୍ଦ ପୁନର୍ବାର ମୋତେ ଦିଅ ଓ ସ୍ୱଚ୍ଛନ୍ଦ ଆତ୍ମା ଦେଇ ମୋତେ ଧରି ରଖ। 13ତହିଁରେ ମୁଁ ଅପରାଧୀମାନଙ୍କୁ ତୁମ୍ଭର ପଥ ଶିଖାଇବି ଓ ପାପୀମାନେ ତୁମ୍ଭ ପ୍ରତି ଫେରିବେ।

ଦ୍ୱିତୀୟ ପାଠ

ଏବ୍ରୀ 5:7–9

7ଈଶ୍ବର ଯିଏ ତାହାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ସେ ଆପଣା ପାର୍ଥିବ ଜୀବନରେ ଥିବା ସମୟରେ, ତାହାଙ୍କ ନିକଟରେ ପ୍ରବଳ ଆର୍ତ୍ତନାଦ ଓ ଅଶ୍ରୁ ସହକାରେ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ, ଆଉ ଉତ୍ତର ସ୍ୱରୂପେ ଆଶଙ୍କାରୁ ରକ୍ଷା ପାଇ 8ପୁତ୍ର ହେଲେ ହେଁ ଦୁଃଖଭୋଗ ଦ୍ୱାରା ଈଶ୍ବରଙ୍କଠାରେ ଆଜ୍ଞାବହତା ଶିଖିଲେ, 9ପୁଣି, ସିଦ୍ଧ ହୋଇ ନିଜ ଆଜ୍ଞାକାରୀମାନଙ୍କ ପ୍ରତି ଅନନ୍ତ ପରିତ୍ରାଣର କାରଣ ସ୍ୱରୂପ ହେଲେ;

ସୁସମାଚାର

ଯୋହ 12:20–33

20ପର୍ବ ସମୟରେ ଉପାସନା କରିବା ନିମନ୍ତେ ଆସିଥିବା ଯାତ୍ରୀମାନଙ୍କ ମଧ୍ୟରେ କେତେକ ଗ୍ରୀକ୍‍ ଲୋକ ଥିଲେ। 21ସେମାନେ ଗାଲିଲୀସ୍ଥ ବେଥ୍‌ସାଇଦାନିବାସୀ ଫିଲିପ୍ପଙ୍କ ନିକଟକୁ ଆସି ତାହାଙ୍କୁ ଅନୁରୋଧ କରି କହିଲେ, ମହାଶୟ, ଯୀଶୁଙ୍କୁ ଦର୍ଶନ କରିବା ନିମନ୍ତେ ଆମ୍ଭମାନଙ୍କର ଇଚ୍ଛା। 22ଫିଲିପ୍ପ ଯାଇ ଆନ୍ଦ୍ରିୟଙ୍କୁ କହିଲେ, ପୁଣି, ଆନ୍ଦ୍ରିୟ ଓ ଫିଲିପ୍ପ ଯାଇ ଯୀଶୁଙ୍କୁ କହିଲେ। 23ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମନୁଷ୍ୟପୁତ୍ର ମହିମାନ୍ୱିତ ହେବା ନିମନ୍ତେ ସମୟ ଉପସ୍ଥିତ। 24ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଗହମବୀଜ ଯଦି ମୃତ୍ତିକାରେ ପଡ଼ି ନ ମରେ, ତାହାହେଲେ ତାହା ଏକମାତ୍ର ଥାଏ, କିନ୍ତୁ ଯଦି ମରେ, ତାହାହେଲେ ବହୁତ ଫଳ ଫଳେ। 25ଯେ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରେ, ସେ ତାହା ହରାଇବ, ଆଉ ଯେ ଆପଣା ପ୍ରାଣକୁ ଇହଜଗତରେ ଘୃଣା କରେ, ସେ ତାହା ଅନନ୍ତ ଜୀବନ ନିମନ୍ତେ ରକ୍ଷା କରିବ। 26କେହି ଯେବେ ମୋହର ସେବକ, ତେବେ ସେ ମୋହର ଅନୁଗମନ କରୁ; ଆଉ, ମୁଁ ଯେଉଁଠାରେ ଥାଏ, ମୋହର ସେବକ ମଧ୍ୟ ସେହିଠାରେ ରହିବ; କେହି ଯେବେ ମୋହର ସେବା କରେ, ତେବେ ପିତା ତାହାକୁ ସମ୍ମାନ ଦେବେ।” 27“ଏବେ ମୋହର ପ୍ରାଣ ଉଦ୍‌ବିଗ୍ନ ହୋଇଅଛି, ଆଉ ମୁଁ କଅଣ କହିବି? ପିତଃ, ମୋତେ ଏହି ସମୟଠାରୁ ରକ୍ଷା କର? କିନ୍ତୁ ଏଥିସକାଶେ ତ ମୁଁ ଏହି ସମୟ ମଧ୍ୟକୁ ଆସିଅଛି। 28ପିତଃ, ଆପଣା ନାମ ମହିମାନ୍ୱିତ କର।” ସେଥିରେ ଆକାଶରୁ ଏହି ବାଣୀ ହେଲା, ଆମ୍ଭେ ତାହା ମହିମାନ୍ୱିତ କରିଅଛୁ, ଆଉ ପୁନର୍ବାର ମହିମାନ୍ୱିତ କରିବୁ। 29ତେଣୁ ପାଖରେ ଠିଆ ହୋଇଥିବା ଲୋକସମୂହ ଏହା ଶୁଣି ମେଘଗର୍ଜ୍ଜନ ହେଲା ବୋଲି କହିଲେ; ଅନ୍ୟମାନେ କହିଲେ, ଜଣେ ଦୂତ ଏହାଙ୍କୁ କଥା କହିଅଛନ୍ତି। 30ଯୀଶୁ ଉତ୍ତର ଦେଲେ, “ମୋʼ ନିମନ୍ତେ ଏହି ବାଣୀ ହୋଇ ନାହିଁ, ମାତ୍ର ତୁମ୍ଭମାନଙ୍କ ନିମନ୍ତେ ହୋଇଅଛି। 31ଏବେ ଏହି ଜଗତର ବିଚାର ଉପସ୍ଥିତ; ଏବେ ଏହି ଜଗତର ଅଧିପତିକୁ ବାହାରେ ପକାଯିବ। 32ଆଉ, ମୁଁ ଯଦି ପୃଥିବୀରୁ ଊର୍ଦ୍ଧ୍ୱକୁ ଉତ୍ଥିତ ହେବି, ତାହାହେଲେ ସମସ୍ତଙ୍କୁ ଆପଣା ନିକଟକୁ ଆକର୍ଷଣ କରିବି। 33ସେ କେଉଁ ପ୍ରକାର ମୃତ୍ୟୁଭୋଗ କରିବାକୁ ଯାଉଅଛନ୍ତି, ସେଥିର ସୂଚନା ଦେଇ ଏହା କହିଲେ।”

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର