ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମାର୍ଚ୍ଚ 2027 › ମାର୍ଚ୍ଚ 15
ଅର୍ଥୋଡକ୍ସ ପଞ୍ଜିକା · 2 ମାର୍ଚ୍ଚ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 15 ମାର୍ଚ୍ଚ 2027
ସୋମବାର · ମହା ଉପବାସର ପ୍ରଥମ ସପ୍ତାହ · ସ୍ୱର 8
ପର୍ବ ଓ ସନ୍ଥ
ମହା ଉପବାସର ଆରମ୍ଭ
ମହା ଉପବାସ
ଖାଦ୍ୟରୁ ସମ୍ପୂର୍ଣ୍ଣ ବିରତି
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ଷଷ୍ଠ ଘଣ୍ଟା
1ଆମୋସର ପୁତ୍ର ଯିଶାଇୟଙ୍କର ଦର୍ଶନ, ସେ ଯିହୁଦା-ରାଜାଗଣ ଉଷୀୟ, ଯୋଥମ୍, ଆହସ୍ ଓ ହିଜକୀୟର ରାଜତ୍ୱ ସମୟରେ ଯିହୁଦା ଓ ଯିରୂଶାଲମ ବିଷୟରେ ଏହି ଦର୍ଶନ ପାଇଲେ। 2ହେ ଆକାଶମଣ୍ଡଳ, ଶୁଣ, ହେ ପୃଥିବୀ, କର୍ଣ୍ଣପାତ କର, କାରଣ ସଦାପ୍ରଭୁ କହିଅଛନ୍ତି; “ଆମ୍ଭେ ସନ୍ତାନଗଣକୁ ପ୍ରତିପାଳନ ଓ ଭରଣପୋଷଣ କରିଅଛୁ, ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚରଣ କରିଅଛନ୍ତି। 3ଗୋରୁ ଆପଣା ଖାଉନ୍ଦକୁ ଓ ଗର୍ଦ୍ଦଭ ଆପଣା କର୍ତ୍ତାର କୁଣ୍ଡକୁ ଚିହ୍ନେ; ମାତ୍ର ଇସ୍ରାଏଲ ଜାଣେ ନାହିଁ, ଆମ୍ଭର ଲୋକମାନେ ବିବେଚନା କରନ୍ତି ନାହିଁ।” 4ଆହା ପାପିଷ୍ଠ ଗୋଷ୍ଠୀ, ଅଧର୍ମରେ ଭାରଗ୍ରସ୍ତ ଲୋକେ, ଦୁଷ୍କର୍ମକାରୀମାନଙ୍କ ବଂଶ, ଭ୍ରଷ୍ଟାଚାରୀ ସନ୍ତାନଗଣ! ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଅଛନ୍ତି, ସେମାନେ ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ଅବଜ୍ଞା କରିଅଛନ୍ତି, ସେମାନେ ବିମୁଖ ହୋଇ ପଛକୁ ଚାଲି ଯାଇଅଛନ୍ତି। 5ତୁମ୍ଭେମାନେ ଅଧିକ ଅଧିକ ବିଦ୍ରୋହାଚରଣ କରିବା ପାଇଁ କାହିଁକି ଆହୁରି ପ୍ରହାରିତ ହେବ? ମସ୍ତକଯାକ ପୀଡ଼ିତ ଓ ସମୁଦାୟ ହୃଦୟ ଦୁର୍ବଳ ହୋଇଅଛି। 6ପାଦର ତଳଠାରୁ ମସ୍ତକ ପର୍ଯ୍ୟନ୍ତ କିଛି ସ୍ୱାସ୍ଥ୍ୟ ନାହିଁ; କେବଳ କ୍ଷତ, ଦାଗ ଓ ପୂଜପୂର୍ଣ୍ଣ ଘା; ସେହି ସବୁ ଟିପା କିମ୍ବା ବନ୍ଧାଯାଇ ନାହିଁ, କିଅବା ତୈଳ ଦ୍ୱାରା କୋମଳ କରାଯାଇ ନାହିଁ। 7ତୁମ୍ଭମାନଙ୍କର ଦେଶ ଧ୍ୱଂସସ୍ଥାନ; ତୁମ୍ଭମାନଙ୍କର ନଗରସବୁ ଅଗ୍ନିରେ ଦଗ୍ଧ; ତୁମ୍ଭମାନଙ୍କର ଭୂମି ବିଦେଶୀମାନେ ତୁମ୍ଭମାନଙ୍କର ସାକ୍ଷାତରେ ଗ୍ରାସ କରନ୍ତି, ତାହା ବିଦେଶୀମାନଙ୍କ ଦ୍ୱାରା ବିନଷ୍ଟ ହେବା ତୁଲ୍ୟ ଧ୍ୱଂସସ୍ଥାନ ହୋଇଅଛି। 8ପୁଣି, ସିୟୋନର କନ୍ୟା ଦ୍ରାକ୍ଷାକ୍ଷେତ୍ରର କୁଟୀର, କାକୁଡ଼ିକ୍ଷେତ୍ରର ବସା, ଅବରୁଦ୍ଧ ନଗର ତୁଲ୍ୟ ହୋଇ ରହିଅଛି। 9ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ଅତି ଅଳ୍ପ ଲୋକ ଅବଶିଷ୍ଟ ରଖି ନ ଥିଲେ, ଆମ୍ଭେମାନେ ସଦୋମର ତୁଲ୍ୟ ହୋଇଥାʼନ୍ତୁ, ଆମ୍ଭେମାନେ ହମୋରାର ତୁଲ୍ୟ ହୋଇଥାʼନ୍ତୁ। 10ହେ ସଦୋମର ଶାସନକର୍ତ୍ତାମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ, ହେ ହମୋରାର ଲୋକମାନେ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବ୍ୟବସ୍ଥାରେ କର୍ଣ୍ଣପାତ କର। 11ସଦାପ୍ରଭୁ କହନ୍ତି, “ଆମ୍ଭ ଉଦ୍ଦେଶ୍ୟରେ ତୁମ୍ଭମାନଙ୍କ ଅପାର ବଳିଦାନର ଅଭିପ୍ରାୟ କଅଣ? ଆମ୍ଭେ ମେଷଗଣର ହୋମବଳିରେ ଓ ପୁଷ୍ଟ ପଶୁଗଣର ମେଦରେ ପୂର୍ଣ୍ଣ ହୋଇଅଛୁ; ପୁଣି, ବୃଷ କିମ୍ବା ମେଷ କିମ୍ବା ଛାଗଳମାନଙ୍କ ରକ୍ତରେ ଆମ୍ଭର ତୁଷ୍ଟି ନାହିଁ। 12ତୁମ୍ଭେମାନେ ଆମ୍ଭ ସମ୍ମୁଖରେ ଉପସ୍ଥିତ ହେବା ବେଳେ ଆମ୍ଭର ପ୍ରାଙ୍ଗଣସକଳ ପଦ ତଳେ ଦଳିବା ପାଇଁ କିଏ ତୁମ୍ଭମାନଙ୍କଠାରୁ ଚାହିଁଅଛି? 13ଅସାର ନୈବେଦ୍ୟ ଆଉ ଆଣ ନାହିଁ; ଧୂପଦାହ ଆମ୍ଭର ଘୃଣିତ; ତୁମ୍ଭର ଅମାବାସ୍ୟା ଓ ବିଶ୍ରାମବାର, ସଭାର ଘୋଷଣା ଏହି ଅଧର୍ମ ଓ ମହାସଭା ଆମ୍ଭେ ସହି ପାରୁ ନାହୁଁ। 14ଆମ୍ଭ ପ୍ରାଣ ତୁମ୍ଭମାନଙ୍କର ଅମାବାସ୍ୟା ଓ ନିରୂପିତ ପର୍ବସବୁ ଘୃଣା କରେ; ସେହି ସବୁ ଆମ୍ଭ ପ୍ରତି କ୍ଲେଶକର; ଆମ୍ଭେ ସେହି ସବୁ ବହିବାକୁ କ୍ଳାନ୍ତ ହୋଇଅଛୁ। 15ପୁଣି, ତୁମ୍ଭେମାନେ ଆପଣାମାନଙ୍କର ହସ୍ତ ପ୍ରସାର କଲା ବେଳେ ଆମ୍ଭେ ତୁମ୍ଭମାନଙ୍କଠାରୁ ଆପଣା ଚକ୍ଷୁ ଆଚ୍ଛାଦନ କରିବା; ଆହୁରି, ତୁମ୍ଭେମାନେ ଅନେକ ପ୍ରାର୍ଥନା କଲା ବେଳେ ଆମ୍ଭେ ଶୁଣିବା ନାହିଁ। ତୁମ୍ଭମାନଙ୍କ ହସ୍ତ ରକ୍ତରେ ପରିପୂର୍ଣ୍ଣ। 16ତୁମ୍ଭେମାନେ ଆପଣାମାନଙ୍କୁ ଧୌତ କର, ଆପଣାମାନଙ୍କୁ ଶୁଚି କର; ଆମ୍ଭ ଦୃଷ୍ଟିରୁ ଆପଣାମାନଙ୍କର କ୍ରିୟାର ମନ୍ଦତା ଦୂର କର; କୁକ୍ରିୟା କରିବାରୁ ନିବୃତ୍ତ ହୁଅ; 17ସୁକ୍ରିୟା କରିବାକୁ ଶିଖ; ନ୍ୟାୟବିଚାର ଚେଷ୍ଟା କର, ଉପଦ୍ରବଗ୍ରସ୍ତମାନଙ୍କର ସାହାଯ୍ୟ କର, ପିତୃହୀନମାନଙ୍କର ନ୍ୟାୟବିଚାର କର, ବିଧବାମାନଙ୍କ ପକ୍ଷରେ ପ୍ରତିବାଦ କର।” 18ସଦାପ୍ରଭୁ କହନ୍ତି, “ଆସ, ଆମ୍ଭେମାନେ ଉତ୍ତର ପ୍ରତ୍ୟୁତ୍ତର କରୁ; ତୁମ୍ଭମାନଙ୍କର ପାପସବୁ ସିନ୍ଦୂର ବର୍ଣ୍ଣ ପରି ହେଲେ ହେଁ ହିମ ପରି ଶୁକ୍ଳବର୍ଣ୍ଣ ହେବ; ସେହି ସବୁ ଲୋହିତବର୍ଣ୍ଣ ପରି ରଙ୍ଗ ହେଲେ ହେଁ ମେଷଲୋମ ପରି ହେବ। 19ଯଦି ତୁମ୍ଭେମାନେ ସମ୍ମତ ଓ ଆଜ୍ଞାବହ ହେବ, ତେବେ ଦେଶର ଉତ୍ତମ ଫଳ ଭୋଗ କରିବ। 20ମାତ୍ର ଯଦି ତୁମ୍ଭେମାନେ ଅସମ୍ମତ ଓ ବିରୁଦ୍ଧାଚାରୀ ହେବ, ତେବେ ଖଡ୍ଗଭୁକ୍ତ ହେବ; କାରଣ ସଦାପ୍ରଭୁଙ୍କ ମୁଖ ଏହା କହିଅଛି।”
ସନ୍ଧ୍ୟା ପ୍ରାର୍ଥନା: ପାଠ
1ଆଦ୍ୟରେ ପରମେଶ୍ୱର ସ୍ୱର୍ଗସମୂହ ଓ ପୃଥିବୀକୁ ସୃଷ୍ଟି କଲେ। 2ପୃଥିବୀ ନିର୍ଜନ ଓ ଶୂନ୍ୟ ଥିଲା, ଆଉ ଗଭୀର ଜଳ ଉପରେ ଅନ୍ଧକାର ଥିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ଜଳ ଉପରେ ବ୍ୟାପ୍ତ ଥିଲେ। 3ଏଥିଉତ୍ତାରେ ପରମେଶ୍ୱର କହିଲେ, “ଦୀପ୍ତି ହେଉ,” ତହିଁରେ ଦୀପ୍ତି ହେଲା। 4ଆଉ ପରମେଶ୍ୱର ଦୀପ୍ତିକୁ ଦେଖିଲେ ଯେ ତାହା ଉତ୍ତମ; ତହୁଁ ପରମେଶ୍ୱର ଅନ୍ଧକାରରୁ ଦୀପ୍ତିକୁ ଭିନ୍ନ କଲେ। 5ପୁଣି, ପରମେଶ୍ୱର ଦୀପ୍ତିର ନାମ “ଦିବସ,” ଓ ଅନ୍ଧକାରର ନାମ “ରାତ୍ରି” ଦେଲେ। ତହୁଁ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପ୍ରଥମ ଦିବସ ହେଲା। 6ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ମଧ୍ୟରେ ଶୂନ୍ୟ ଜାତ ହୋଇ ଜଳକୁ ଦୁଇ ଭାଗରେ ଭିନ୍ନ କରୁ।” 7ଏହିରୂପେ ପରମେଶ୍ୱର ଶୂନ୍ୟ ନିର୍ମାଣ କରି ଶୂନ୍ୟର ଊର୍ଦ୍ଧ୍ୱସ୍ଥ ଜଳରୁ ଶୂନ୍ୟର ଅଧଃସ୍ଥ ଜଳକୁ ଭିନ୍ନ କଲେ; ତହିଁରେ ସେହିରୂପ ହେଲା। 8ଆଉ ପରମେଶ୍ୱର ସେହି ଶୂନ୍ୟର ନାମ “ଆକାଶମଣ୍ଡଳ” ଦେଲେ। ପୁଣି, ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଦ୍ୱିତୀୟ ଦିବସ ହେଲା। 9ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆକାଶମଣ୍ଡଳର ଅଧଃସ୍ଥ ସମଗ୍ର ଜଳ ଏକ ସ୍ଥାନରେ ସଂଗୃହୀତ ହେଉ ଓ ସ୍ଥଳ ପ୍ରକାଶ ହେଉ,” ତହିଁରେ ସେହିରୂପ ହେଲା। 10ପୁଣି, ପରମେଶ୍ୱର ସ୍ଥଳର ନାମ “ପୃଥିବୀ,” ଓ ଜଳରାଶିର ନାମ “ସମୁଦ୍ର” ଦେଲେ; ଆଉ ପରମେଶ୍ୱର ତାହା ଉତ୍ତମ ଦେଖିଲେ। 11ଏଉତ୍ତାରୁ ପରମେଶ୍ୱର କହିଲେ, “ପୃଥିବୀ ତୃଣ ଓ ସବୀଜ ଶାକ ଓ ବୀଜ ସମ୍ବଳିତ ସ୍ୱ ସ୍ୱ ଜାତି ଅନୁଯାୟୀ ଫଳୋତ୍ପାଦକ ଫଳବୃକ୍ଷ ଭୂମି ଉପରେ ଉତ୍ପନ୍ନ କରୁ,” ତହିଁରେ ସେପରି ହେଲା। 12ଅର୍ଥାତ୍, ପୃଥିବୀ ତୃଣ ଓ ସ୍ୱ ସ୍ୱ ଜାତି ଅନୁସାରେ ବୀଜଉତ୍ପାଦକ ଶାକ ଓ ସ୍ୱ ସ୍ୱ ଜାତି ଅନୁସାରେ ସବୀଜ ଫଳୋତ୍ପାଦକ ବୃକ୍ଷ ଉତ୍ପନ୍ନ କଲା; ପୁଣି, ପରମେଶ୍ୱର ତାହା ଉତ୍ତମ ଦେଖିଲେ। 13ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ତୃତୀୟ ଦିବସ ହେଲା।
ସନ୍ଧ୍ୟା ପ୍ରାର୍ଥନା: ପାଠ
1ଦାଉଦଙ୍କ ପୁତ୍ର ଇସ୍ରାଏଲର ରାଜା ଶଲୋମନଙ୍କ ହିତୋପଦେଶ; 2ଜ୍ଞାନ ଓ ଉପଦେଶ ବୁଝିବାକୁ; ଜ୍ଞାନଜନକ ବାକ୍ୟ ବିବେଚନା କରିବାକୁ; 3ସୁଆଚରଣ, ସାଧୁତା ଓ ସୁବିବେଚନା ଏବଂ ନ୍ୟାୟ ବିଷୟରେ ଉପଦେଶ ଗ୍ରହଣ କରିବାକୁ; 4ସରଳ ଲୋକଙ୍କୁ ସତର୍କତା ଓ ଯୁବା ଲୋକକୁ ବିଦ୍ୟା ଓ ପରିଣାମଦର୍ଶିତା ଦେବାକୁ; 5ଯେପରି ଜ୍ଞାନବାନ ଲୋକ (ତାହା) ଶୁଣି ପାଣ୍ଡିତ୍ୟରେ ବୃଦ୍ଧି ପାଇବ ଏବଂ ବୁଦ୍ଧିମାନ ଲୋକ ହିତଜନକ ପରାମର୍ଶ ପ୍ରାପ୍ତ ହେବ; 6ପୁଣି, ଏକ ଉପଦେଶ କଥା ଓ ଏକ ରୂପକ କଥା ଏବଂ ପଣ୍ଡିତମାନଙ୍କର ବାକ୍ୟ ଓ ସେମାନଙ୍କର ଗୂଢ଼ ବଚନ ବୁଝି ପାରିବ। 7ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ; ମାତ୍ର ନିର୍ବୋଧ ଲୋକେ ଜ୍ଞାନ ଓ ଉପଦେଶ ତୁଚ୍ଛବୋଧ କରନ୍ତି। 8ହେ ମୋହର ପୁତ୍ର, ତୁମ୍ଭ ପିତାର ଉପଦେଶ ଶୁଣ ଓ ତୁମ୍ଭ ମାତାର ଆଦେଶ ପରିତ୍ୟାଗ କର ନାହିଁ। 9ଯେହେତୁ ତାହା ତୁମ୍ଭର ଅନୁଗ୍ରହଜନକ ଶିରୋଭୂଷଣ ଓ ଗଳଦେଶର ହାର ସ୍ୱରୂପ ହେବ। 10ହେ ମୋହର ପୁତ୍ର, ପାପୀଗଣ ତୁମ୍ଭକୁ ଫୁସୁଲାଇଲେ, ତୁମ୍ଭେ ସମ୍ମତ ହୁଅ ନାହିଁ। 11ସେମାନେ ଯଦି କହନ୍ତି, “ଆମ୍ଭମାନଙ୍କ ସହିତ ଆସ, ଆମ୍ଭେମାନେ ହତ୍ୟା କରିବାକୁ ଛକି ବସୁ, ନିର୍ଦ୍ଦୋଷମାନଙ୍କୁ ଅକାରଣରେ ଧରିବାକୁ ଗୁପ୍ତରେ ଲୁଚି ରହୁ; 12ପାତାଳର ନ୍ୟାୟ ଆମ୍ଭେମାନେ ସେମାନଙ୍କୁ ଜୀଅନ୍ତା ଗ୍ରାସ କରୁ ଓ ଗର୍ତ୍ତପତିତ ଲୋକ ପରି ସେମାନଙ୍କୁ ସର୍ବତୋଭାବେ ଗ୍ରାସ କରୁ; 13ତହିଁରେ ଆମ୍ଭେମାନେ ସର୍ବପ୍ରକାର ବହୁମୂଲ୍ୟ ଧନ ପାଇବା, ଲୁଟିତ ଦ୍ରବ୍ୟରେ ଆପଣା ଆପଣା ଗୃହ ପରିପୂର୍ଣ୍ଣ କରିବା, 14ତୁମ୍ଭେ ଆମ୍ଭମାନଙ୍କ ମଧ୍ୟରେ ଅଂଶୀ ହେବ; ଆମ୍ଭ ସମସ୍ତଙ୍କର ଏକ ତୋଡ଼ା ହେବ;” 15ହେ ମୋହର ପୁତ୍ର, ତୁମ୍ଭେ ସେମାନଙ୍କ ସଙ୍ଗେ ସେହି ପଥରେ ଚାଲ ନାହିଁ, ସେମାନଙ୍କ ପଥରୁ ଆପଣା ପାଦ ଅଟକାଅ; 16ଯେହେତୁ ସେମାନଙ୍କ ଚରଣ କୁକ୍ରିୟା କରିବାକୁ ଦୌଡ଼େ ଓ ରକ୍ତପାତ କରିବାକୁ ଶୀଘ୍ର ଧାଇଁ ଯାଏ। 17କୌଣସି ପକ୍ଷୀର ଆଖି ଆଗରେ ଜାଲ ପାତିବା ନିତାନ୍ତ ବ୍ୟର୍ଥ ହୁଏ। 18ସେମାନେ ନିଜ ନିଜର ରକ୍ତପାତ କରିବାକୁ ଛକି ବସନ୍ତି ଓ ଆପଣାମାନଙ୍କ ପ୍ରାଣକୁ (ଧରିବା ପାଇଁ) ଗୁପ୍ତରେ ଲୁଚି ରହନ୍ତି। 19ସମସ୍ତ ଧନଲୋଭୀର ଗତି ଏହି; ତାହା ଧନର ଅଧିକାରୀମାନଙ୍କର ପ୍ରାଣନାଶ କରେ। 20ଜ୍ଞାନ ରାସ୍ତାରେ ଉଚ୍ଚସ୍ୱରରେ ଡାକେ; ସେ ଛକ ସ୍ଥାନମାନଙ୍କରେ ଆପଣା ରବ ଶୁଣାଏ;
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ମାର୍ଚ୍ଚ 2 ନାଗରିକ ପଞ୍ଜିକାର ମାର୍ଚ୍ଚ 15। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର