Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମାର୍ଚ୍ଚ 2027 › ମାର୍ଚ୍ଚ 18

ଅର୍ଥୋଡକ୍ସ ପଞ୍ଜିକା · 5 ମାର୍ଚ୍ଚ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 18 ମାର୍ଚ୍ଚ 2027

ଗୁରୁବାର · ମହା ଉପବାସର ପ୍ରଥମ ସପ୍ତାହ · ସ୍ୱର 8

ପର୍ବ ଓ ସନ୍ଥ

Martyr Conon of Isauria (1st C)

ମହା ଉପବାସ

କଠୋର ଉପବାସ (ଶୁଖିଲା ଆହାର: ରୁଟି, ପନିପରିବା, ଫଳ)

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ଷଷ୍ଠ ଘଣ୍ଟା

ଯିଶା 2:11–21

11ମନୁଷ୍ୟର ଉଚ୍ଚ ଦୃଷ୍ଟି ନତ ହେବ ଓ ମନୁଷ୍ୟମାନଙ୍କର ଅହଙ୍କାର ଅବନତ ହେବ, ପୁଣି, ସେହି ଦିନରେ କେବଳ ସଦାପ୍ରଭୁ ଉନ୍ନତ ହେବେ। 12କାରଣ ଅହଙ୍କାରୀ, ଗର୍ବିତ ଓ ଉଚ୍ଚୀକୃତ ସମସ୍ତଙ୍କ ପ୍ରତିକୂଳରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏକ ଦିନ ଉପସ୍ଥିତ ହେବ, ତହିଁରେ ତାହା ନତ ହେବ; 13ଅର୍ଥାତ୍‍, (ସେହି ଦିନ) ଲିବାନୋନର ଉଚ୍ଚ ଓ ଉନ୍ନତ ସକଳ ଏରସ ବୃକ୍ଷର ପ୍ରତିକୂଳ ଓ ବାଶନର ସମସ୍ତ ଅଲୋନ ବୃକ୍ଷର ପ୍ରତିକୂଳ; 14ପୁଣି, ସକଳ ଉଚ୍ଚ ପର୍ବତର ପ୍ରତିକୂଳ ଓ ସକଳ ଉନ୍ନତ ଉପପର୍ବତର ପ୍ରତିକୂଳ; 15ଆଉ, ପ୍ରତ୍ୟେକ ଉଚ୍ଚ ଦୁର୍ଗର ପ୍ରତିକୂଳ ଓ ପ୍ରତ୍ୟେକ ସୁଦୃଢ଼ ପ୍ରାଚୀରର ପ୍ରତିକୂଳ; 16ତର୍ଶୀଶର ସକଳ ଜାହାଜର ପ୍ରତିକୂଳ ଓ ମନୋହର ସକଳ ଶିଳ୍ପକର୍ମର ପ୍ରତିକୂଳ ହେବ। 17ପୁଣି, ମନୁଷ୍ୟର ଉଚ୍ଚତା ନତ ହେବ ଓ ମନୁଷ୍ୟମାନଙ୍କର ଅହଙ୍କାର ଅବନତ ହେବ; ଆଉ ସେହି ଦିନରେ କେବଳ ସଦାପ୍ରଭୁ ଉନ୍ନତ ହେବେ। 18ପୁଣି, ପ୍ରତିମାସକଳ ନିଃଶେଷ ରୂପେ ଲୁପ୍ତ ହେବେ। 19ଆଉ, ଯେତେବେଳେ ସଦାପ୍ରଭୁ ପୃଥିବୀକୁ ଅତିଶୟ କମ୍ପିତ କରିବାକୁ ଉଠିବେ, ସେତେବେଳେ ଲୋକମାନେ ତାହାଙ୍କ ଭୟାନକତ୍ତ୍ୱ ଓ ମହିମାର ତେଜରୁ ଶୈଳର ଗୁମ୍ଫା ଓ ପୃଥିବୀର ଗର୍ତ୍ତରେ ପ୍ରବେଶ କରିବେ। 20ସଦାପ୍ରଭୁ ପୃଥିବୀକୁ ଅତିଶୟ କମ୍ପିତ କରିବା ପାଇଁ ଉଠିଲେ, ତାହାଙ୍କ ଭୟାନକତ୍ତ୍ୱ ଓ ତାହାଙ୍କ ମହିମାର ତେଜରୁ ଶୈଳର ଗହ୍ୱର ଓ ଶୈଳର ବିଦୀର୍ଣ୍ଣ ସ୍ଥାନରେ ପ୍ରବେଶ କରିବା ପାଇଁ; 21ମନୁଷ୍ୟ ଆପଣାର ଭଜନାର୍ଥେ ନିର୍ମିତ ରୌପ୍ୟମୟ ପ୍ରତିମା ଓ ସ୍ୱର୍ଣ୍ଣମୟ ପ୍ରତିମାଗଣକୁ ସେହି ଦିନ ମୂଷିକ ଓ ଚାମଚିକାଗଣର ନିକଟରେ ପକାଇ ଦେବ।

ସନ୍ଧ୍ୟା ପ୍ରାର୍ଥନା: ପାଠ

ଆଦି 2:4–19

4ସୃଷ୍ଟିକାଳରେ ଆକାଶମଣ୍ଡଳ ଓ ପୃଥିବୀର ବିବରଣ ଏହି। ଯେଉଁ ସମୟରେ ସଦାପ୍ରଭୁ ପରମେଶ୍ୱର ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କଲେ, 5ସେହି ସମୟରେ କ୍ଷେତ୍ରରେ କୌଣସି ତୃଣ ନ ଥିଲା ଓ ଭୂମିରେ କୌଣସି ଶାକ ନ ଥିଲା; ଯେହେତୁ ସଦାପ୍ରଭୁ ପରମେଶ୍ୱର ପୃଥିବୀରେ ବୃଷ୍ଟି କରାଇ ନ ଥିଲେ, ଆଉ କୃଷିକର୍ମ କରିବାକୁ ମନୁଷ୍ୟ ହିଁ ନ ଥିଲା। 6ପୁଣି, ପୃଥିବୀରୁ ଏକ କୁହୁଡ଼ି ଉଠି ସମସ୍ତ ଭୂମିରେ ଜଳ ସିଞ୍ଚିଲା। 7ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଭୂମିର ଧୂଳି ଦ୍ୱାରା ମନୁଷ୍ୟକୁ ନିର୍ମାଣ କରି ତାହାର ନାସିକାରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ; ତହିଁରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା। 8ଆଉ ସଦାପ୍ରଭୁ ପରମେଶ୍ୱର ପୂର୍ବଦିଗସ୍ଥ ଏଦନ ନାମକ ସ୍ଥାନରେ ଏକ ଉଦ୍ୟାନ ପ୍ରସ୍ତୁତ କରି ସେଠାରେ ସ୍ୱନିର୍ମିତ ମନୁଷ୍ୟକୁ ରଖିଲେ। 9ସଦାପ୍ରଭୁ ପରମେଶ୍ୱର ସେହି ଭୂମିରୁ ନାନାଜାତୀୟ ସୁଦୃଶ୍ୟ ଓ ସୁଖାଦ୍ୟ ବୃକ୍ଷ, ପୁଣି, ସେହି ଉଦ୍ୟାନର ମଧ୍ୟସ୍ଥାନରେ ଅମୃତ ବୃକ୍ଷ ଓ ସଦସତ୍‍ ଜ୍ଞାନଦାୟକ ବୃକ୍ଷ ଉତ୍ପନ୍ନ କଲେ। 10ଉଦ୍ୟାନରେ ଜଳସେଚନାର୍ଥେ ଏଦନରୁ ଗୋଟିଏ ନଦୀ ନିର୍ଗତ ହୋଇ ସେହି ସ୍ଥାନରୁ ଭିନ୍ନ ଭିନ୍ନ ଚାରିଧାର ହେଲା। 11ପ୍ରଥମ ନଦୀର ନାମ ପିଶୋନ; ତାହା ସ୍ୱର୍ଣ୍ଣୋତ୍ପାଦକ ହବୀଲା ଦେଶସମୂହକୁ ବେଷ୍ଟନ କରେ। 12ସେହି ଦେଶର ସୁବର୍ଣ୍ଣ ଉତ୍ତମ, ପୁଣି, ସେଠାରେ ମୁକ୍ତା ଓ ଗୋମେଦକ ମଣି ଜନ୍ମଇ। 13ଦ୍ୱିତୀୟ ନଦୀର ନାମ ଗୀହୋନ; ଏହା ସମସ୍ତ କୂଶ ଦେଶ ବେଷ୍ଟନ କରେ। 14ତୃତୀୟ ନଦୀର ନାମ ହିଦ୍ଦେକଲ, ଏହା ପୂର୍ବ ଅଶୂରୀୟ ଦେଶର ସମ୍ମୁଖ ଦେଇ ଗମନ କରେ। ଚତୁର୍ଥ ନଦୀର ନାମ ଫରାତ୍‍। 15ପୁଣି, ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ନେଇ ଏଦନ ଉଦ୍ୟାନକୁ ସୁସଜ୍ଜିତ ଓ ରକ୍ଷା କରିବା ପାଇଁ ନିଯୁକ୍ତ କଲେ। 16ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ଆଜ୍ଞା ଦେଇ କହିଲେ, “ତୁମ୍ଭେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ସ୍ୱଚ୍ଛନ୍ଦରେ ଭୋଜନ କରିପାର, 17ମାତ୍ର, ସଦସତ୍‍ ଜ୍ଞାନଦାୟକ ବୃକ୍ଷର ଫଳ ଭୋଜନ କରିବ ନାହିଁ, ଯେହେତୁ ଯେଉଁ ଦିନ ତାହା ଖାଇବ, ସେହି ଦିନ ନିତାନ୍ତ ମରିବ।” 18ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ମନୁଷ୍ୟ ଏକାକୀ ଥିବା ଭଲ ନୁହେଁ, ଆମ୍ଭେ ତାହା ନିମନ୍ତେ ତାହାର ଅନୁରୂପ ସହକାରିଣୀ ନିର୍ମାଣ କରିବା।” 19ଆଉ ସଦାପ୍ରଭୁ ପରମେଶ୍ୱର ଭୂମିରୁ ବିଲର ପଶୁଗଣ ଓ ଖେଚର ପକ୍ଷୀଗଣ ନିର୍ମାଣ କରି ଆଦମ ସେମାନଙ୍କୁ କି ନାମ ଦେବେ, ଏହା ଜାଣିବା ପାଇଁ ସମସ୍ତଙ୍କୁ ତାଙ୍କ ନିକଟକୁ ଆଣିଲେ। ତହିଁରେ ଆଦମ ସେହି ପ୍ରାଣୀବର୍ଗ ମଧ୍ୟରୁ ଯାହାକୁ ଯେଉଁ ନାମ ଦେଲେ, ତାହାର ସେହି ନାମ ହେଲା।

ସନ୍ଧ୍ୟା ପ୍ରାର୍ଥନା: ପାଠ

ହିତୋ 3:1–18

1ହେ ମୋହର ପୁତ୍ର, ତୁମ୍ଭେ ମୋହର ବ୍ୟବସ୍ଥା ପାସୋର ନାହିଁ; ମାତ୍ର ତୁମ୍ଭର ହୃଦୟ ମୋହର ଆଜ୍ଞାସବୁ ପାଳନ କରୁ। 2ଯେହେତୁ ତଦ୍ଦ୍ୱାରା ପରମାୟୁର ଦୀର୍ଘତା ଓ ଜୀବନର ବର୍ଷ ସଂଖ୍ୟା ଓ ଶାନ୍ତି ବୃଦ୍ଧି ହେବ। 3ଦୟା ଓ ସତ୍ୟତା ତୁମ୍ଭକୁ ପରିତ୍ୟାଗ ନ କରୁ; ଆପଣା କଣ୍ଠରେ ଉଭୟକୁ ବାନ୍ଧ ଓ ଆପଣା ଚିତ୍ତରୂପ ପଟାରେ ଲେଖି ରଖ। 4ତାହା କଲେ, ତୁମ୍ଭେ ପରମେଶ୍ୱର ଓ ମନୁଷ୍ୟ ଦୃଷ୍ଟିରେ ଅନୁଗ୍ରହ ଓ ସୁବିବେଚନା ଲାଭ କରିବ। 5ତୁମ୍ଭେ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର ଓ ନିଜ ସୁବିବେଚନାରେ ଆଉଜି ପଡ଼ ନାହିଁ। 6ଆପଣାର ସବୁ ଗତିରେ ତାହାଙ୍କୁ ସ୍ୱୀକାର କର; ତହିଁରେ ସେ ତୁମ୍ଭର ପଥସବୁ ସରଳ କରିବେ। 7ତୁମ୍ଭେ ଆପଣା ଦୃଷ୍ଟିରେ ଜ୍ଞାନବାନ ହୁଅ ନାହିଁ; ସଦାପ୍ରଭୁଙ୍କୁ ଭୟ କର ଓ ମନ୍ଦତାରୁ ବିମୁଖ ହୁଅ। 8ତାହା ତୁମ୍ଭ ନାଭିଦେଶର ସ୍ୱାସ୍ଥ୍ୟ ଓ ଅସ୍ଥିର ମଜ୍ଜା ହେବ। 9ତୁମ୍ଭେ ଆପଣା ଧନରେ ଓ ସମସ୍ତ ଆୟର ପ୍ରଥମ ଫଳରେ ସଦାପ୍ରଭୁଙ୍କର ସମାଦର କର। 10ତହିଁରେ ତୁମ୍ଭର ଭଣ୍ଡାର ବହୁ ଧନରେ ପରିପୂର୍ଣ୍ଣ ହେବ ଓ ତୁମ୍ଭ କୁଣ୍ଡରେ ନୂତନ ଦ୍ରାକ୍ଷାରସ ଉଚ୍ଛୁଳି ପଡ଼ିବ। 11ହେ ମୋହର ପୁତ୍ର, ସଦାପ୍ରଭୁଙ୍କ ଅନୁଶାସନ ତୁଚ୍ଛ କର ନାହିଁ ଓ ତାହାଙ୍କ ଶାସନରେ କ୍ଳାନ୍ତ ହୁଅ ନାହିଁ। 12କାରଣ ଯେପରି ପିତା ଆପଣା ସନ୍ତୋଷ ପାତ୍ର ପୁତ୍ରକୁ, ସେପରି ସଦାପ୍ରଭୁ ଆପଣା ପ୍ରେମପାତ୍ରକୁ ଅନୁଶାସନ କରନ୍ତି। 13ଯେଉଁ ଲୋକ ଜ୍ଞାନ ପାଏ ଓ ବୁଦ୍ଧି ଲାଭ କରେ, ସେ ଧନ୍ୟ। 14ଯେହେତୁ ରୂପାର ବାଣିଜ୍ୟଠାରୁ ତାହାର ବାଣିଜ୍ୟ ଉତ୍ତମ, ପୁଣି ଶୁଦ୍ଧ ସୁବର୍ଣ୍ଣଠାରୁ ତାହାର ଲାଭ ଶ୍ରେଷ୍ଠ। 15ତାହା ମୁକ୍ତାଠାରୁ ଅଧିକ ମୂଲ୍ୟବାନ, ପୁଣି ତୁମ୍ଭର କୌଣସି ଇଷ୍ଟବସ୍ତୁ ତାହାର ତୁଲ୍ୟ ହେବାକୁ ଯୋଗ୍ୟ ନୁହେଁ। 16ତାହାର ଡାହାଣ ହସ୍ତରେ ଦୀର୍ଘାୟୁ, ତାହାର ବାମ ହସ୍ତରେ ଧନ ଓ ସମ୍ମାନ ଥାଏ। 17ତାହାର ପଥସବୁ ସୁଖଦାୟକ ପଥ ଓ ତାହାର ସମସ୍ତ ମାର୍ଗ ଶାନ୍ତିକର ଅଟେ। 18ଯେଉଁମାନେ ତାହାର ଆଶ୍ରୟ ନିଅନ୍ତି, ସେମାନଙ୍କ ପ୍ରତି ସେ ଜୀବନଦାୟକ ବୃକ୍ଷ ସ୍ୱରୂପ; ଯେଉଁ ଲୋକ ତାହା ଧରି ରଖେ, ସେ ଧନ୍ୟ।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ମାର୍ଚ୍ଚ 5 ନାଗରିକ ପଞ୍ଜିକାର ମାର୍ଚ୍ଚ 18। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର