Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମାର୍ଚ୍ଚ 2027 › ମାର୍ଚ୍ଚ 19

ଅର୍ଥୋଡକ୍ସ ପଞ୍ଜିକା · 6 ମାର୍ଚ୍ଚ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 19 ମାର୍ଚ୍ଚ 2027

ଶୁକ୍ରବାର · ମହା ଉପବାସର ପ୍ରଥମ ସପ୍ତାହ · ସ୍ୱର 8

ପର୍ବ ଓ ସନ୍ଥ

42 Martyrs of Ammoria in Phrygia († c. 845): Theodore, Constantine, Aetius, Theophilus, Basoes, Callistus, and others

ମହା ଉପବାସ

କଠୋର ଉପବାସ (ଶୁଖିଲା ଆହାର: ରୁଟି, ପନିପରିବା, ଫଳ)

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ଷଷ୍ଠ ଘଣ୍ଟା

ଯିଶା 3:1–14

1ଦେଖ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଯିରୂଶାଲମ ଓ ଯିହୁଦାଠାରୁ ଯଷ୍ଟି ଓ ଯଷ୍ଟିକା, ଅର୍ଥାତ୍‍, ଅନ୍ନ ସ୍ୱରୂପ ସମସ୍ତ ଯଷ୍ଟି ଓ ଜଳ ସ୍ୱରୂପ ସମସ୍ତ ଯଷ୍ଟିକା ଦୂର କରୁଅଛନ୍ତି; 2ବୀର, ଯୋଦ୍ଧା; ବିଚାରକର୍ତ୍ତା, ଭବିଷ୍ୟଦ୍‍ବକ୍ତା, ମନ୍ତ୍ରଜ୍ଞ, ପ୍ରାଚୀନ; 3ପଚାଶପତି, ସମ୍ଭ୍ରାନ୍ତ ମନୁଷ୍ୟ, ମନ୍ତ୍ରୀ, ନିପୁଣ ଶିଳ୍ପକର ଓ ନିପୁଣ ଶୁଭାଶୁଭବାଦୀ (ଦୂରୀକୃତ ହେବେ)। 4ଆମ୍ଭେ ବାଳକମାନଙ୍କୁ ସେମାନଙ୍କର ଅଧିପତି କରିବା ଓ ଶିଶୁମାନେ ସେମାନଙ୍କ ଉପରେ ଶାସନ କରିବେ। 5ଆଉ, ଲୋକମାନେ ଏକ ଜଣ ଅନ୍ୟ ଜଣ ଦ୍ୱାରା ଓ ପ୍ରତ୍ୟେକ ଲୋକ ଆପଣା ପ୍ରତିବାସୀ ଦ୍ୱାରା ଉପଦ୍ରୁତ ହେବେ; ବାଳକ ପ୍ରାଚୀନଙ୍କ ବିରୁଦ୍ଧରେ ଓ ଅଧମ ଲୋକ ସମ୍ଭ୍ରାନ୍ତ ଲୋକ ବିରୁଦ୍ଧରେ ଗର୍ବାଚରଣ କରିବ। 6କେହି କେହି ଆପଣା ଭ୍ରାତାକୁ ତାହାର ପିତୃଗୃହରେ ଧରି କହିବେ, “ତୁମ୍ଭର ବସ୍ତ୍ର ଅଛି, ତୁମ୍ଭେ ଆମ୍ଭମାନଙ୍କର ଶାସନକର୍ତ୍ତା ହୁଅ, ପୁଣି, ଏହି ନିପତିତ (ରାଜ୍ୟ) ତୁମ୍ଭ ହସ୍ତାଧୀନ ହେଉ;” 7ସେ ସେହି ଦିନ ଆପଣା ରବ ଉଠାଇ କହିବ “ମୁଁ ଚିକିତ୍ସକ ହେବି ନାହିଁ; କାରଣ ମୋʼ ଗୃହରେ ଖାଦ୍ୟ କିମ୍ବା ବସ୍ତ୍ର ନାହିଁ; ତୁମ୍ଭେମାନେ ମୋତେ ଲୋକମାନଙ୍କର ଶାସନକର୍ତ୍ତା କର ନାହିଁ।” 8ଯେହେତୁ ଯିରୂଶାଲମ ବିନଷ୍ଟ ଓ ଯିହୁଦା ପତିତ ହୋଇଅଛି; କାରଣ ସଦାପ୍ରଭୁଙ୍କର ପ୍ରତାପବିଶିଷ୍ଟ ଚକ୍ଷୁକୁ କ୍ରୋଧାନ୍ୱିତ କରିବା ପାଇଁ ସେମାନଙ୍କର ଜିହ୍ୱା ଓ କ୍ରିୟା ତାହାଙ୍କର ପ୍ରତିକୂଳ ଅଟେ। 9ସେମାନଙ୍କ ମୁଖର ଆକାର ସେମାନଙ୍କ ପ୍ରତିକୂଳରେ ସାକ୍ଷ୍ୟ ଦିଏ; ପୁଣି, ସେମାନେ ସଦୋମର ନ୍ୟାୟ ଆପଣାମାନଙ୍କ ପାପ ପ୍ରକାଶ କରି ଗୋପନ କରନ୍ତି ନାହିଁ। ସେମାନଙ୍କ ପ୍ରାଣର ସନ୍ତାପ ହେବ! କାରଣ ସେମାନେ ଆପଣାମାନଙ୍କର ଅନିଷ୍ଟ ଆପେ କରିଅଛନ୍ତି। 10ତୁମ୍ଭେମାନେ ଧାର୍ମିକର ବିଷୟରେ କୁହ ଯେ, ତାହାର ମଙ୍ଗଳ ହେବ, ଯେହେତୁ ସେମାନେ ଆପଣା ଆପଣା କର୍ମର ଫଳ ଭୁଞ୍ଜିବେ। 11ଦୁଷ୍ଟ ଲୋକର ସନ୍ତାପ ହେବ! ତାହାର ଅମଙ୍ଗଳ ଘଟିବ; କାରଣ ତାହାର ହସ୍ତକୃତ କର୍ମର ପ୍ରତିଫଳ ତାହାକୁ ଦିଆଯିବ। 12ମୋʼ ଲୋକମାନଙ୍କ ବିଷୟ ଦେଖିଲେ, ବାଳକମାନେ ମୋʼ ଲୋକମାନଙ୍କର ଉପଦ୍ରବକାରୀ ଓ ସ୍ତ୍ରୀମାନେ ସେମାନଙ୍କ ଉପରେ ଶାସନ କରନ୍ତି। ହେ ମୋହର ଲୋକମାନେ, ତୁମ୍ଭର ପଥଦର୍ଶକମାନେ ତୁମ୍ଭକୁ ଭୁଲାନ୍ତି ଓ ତୁମ୍ଭ ଗମନର ପଥ ନଷ୍ଟ କରନ୍ତି। 13ସଦାପ୍ରଭୁ ପ୍ରତିବାଦ କରିବାକୁ ଠିଆ ହେଉଅଛନ୍ତି, ଗୋଷ୍ଠୀୟମାନଙ୍କର ବିଚାର କରିବାକୁ ଠିଆ ହେଉଅଛନ୍ତି। 14ସଦାପ୍ରଭୁ ଆପଣା ଲୋକମାନଙ୍କର ପ୍ରାଚୀନବର୍ଗର ଓ ଅଧିପତିଗଣର ସହିତ ବିଚାରରେ ଉପସ୍ଥିତ ହେବେ; “ତୁମ୍ଭେମାନେ ହିଁ ଦ୍ରାକ୍ଷାକ୍ଷେତ୍ର ଗ୍ରାସ କରିଅଛ; ଦରିଦ୍ରମାନଙ୍କଠାରୁ ଲୁଟିତ ଦ୍ରବ୍ୟ ତୁମ୍ଭମାନଙ୍କ ଗୃହରେ ଅଛି;”

ସନ୍ଧ୍ୟା ପ୍ରାର୍ଥନା: ପାଠ

ଆଦି 2:20–3:20

20ଏହିରୂପେ ଆଦମ ପଶୁ, ଖେଚର ପକ୍ଷୀ ଓ ବିଲର ପ୍ରତ୍ୟେକ ଜନ୍ତୁର ନାମ ଦେଲେ; ମାତ୍ର, ମନୁଷ୍ୟ ନିମନ୍ତେ ତାଙ୍କର ଅନୁରୂପ ସହକାରିଣୀ ଦେଖାଗଲା ନାହିଁ। 21ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଘୋର ନିଦ୍ରାଗ୍ରସ୍ତ କରାଇ ସେହି ନିଦ୍ରା ସମୟରେ ତାଙ୍କର ଖଣ୍ଡେ ପଞ୍ଜରା ନେଇ ମାଂସ ଦ୍ୱାରା ସେହି ସ୍ଥାନ ପୂର୍ଣ୍ଣ କଲେ। 22ଆଉ ସଦାପ୍ରଭୁ ପରମେଶ୍ୱର ଆଦମଙ୍କଠାରୁ ଯେଉଁ ପଞ୍ଜରା ଖଣ୍ଡିକ ନେଲେ, ତଦ୍ଦ୍ୱାରା ଏକ ସ୍ତ୍ରୀ ନିର୍ମାଣ କରି ଆଦମଙ୍କ ନିକଟକୁ ଆଣିଲେ। 23ତହୁଁ ଆଦମ କହିଲେ, “ଏଥର ହେଲା; ଏ ମୋହର ଅସ୍ଥିର ଅସ୍ଥି ଓ ମାଂସର ମାଂସ; ଏହାର ନାମ ନାରୀ, ଯେହେତୁ ଏ ନରଠାରୁ ନୀତା ହୋଇଅଛି।” 24ଏନିମନ୍ତେ ମନୁଷ୍ୟ ଆପଣା ପିତାମାତାଙ୍କୁ ଛାଡ଼ି ଆପଣା ଭାର୍ଯ୍ୟାଠାରେ ଆସକ୍ତ ହେବ, ଆଉ ସେମାନେ ଏକାଙ୍ଗ ହେବେ। 25ଆଦମ ଓ ତାଙ୍କର ଭାର୍ଯ୍ୟା, ଦୁହେଁ ଉଲଙ୍ଗ ଥିଲେ ହେଁ ସେମାନଙ୍କର ଲଜ୍ଜାବୋଧ ନ ଥିଲା। 3:1ସଦାପ୍ରଭୁ ପରମେଶ୍ୱରଙ୍କ ନିର୍ମିତ ଭୂଚର ପଶୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଷା ଖଳ ଥିଲା। ସେ ନାରୀଙ୍କୁ କହିଲା, “ଆଗୋ, ଏ କି ସତ୍ୟ, ‘ଉଦ୍ୟାନର କୌଣସି ବୃକ୍ଷର ଫଳ ଖାଇବାକୁ ପରମେଶ୍ୱର ତୁମ୍ଭମାନଙ୍କୁ ନିଷେଧ କରିଅଛନ୍ତି?’” 2ନାରୀ ସର୍ପକୁ କହିଲେ, “ଆମ୍ଭେମାନେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ଖାଇପାରୁ; 3କେବଳ ଉଦ୍ୟାନର ମଧ୍ୟସ୍ଥିତ ବୃକ୍ଷର ଫଳ ବିଷୟରେ ପରମେଶ୍ୱର କହିଅଛନ୍ତି, ‘ତୁମ୍ଭେମାନେ ତାହା ଖାଇବ ନାହିଁ ଓ ଛୁଇଁବ ନାହିଁ, ତାହା କଲେ ମରିବ।’” 4ସର୍ପ ନାରୀଙ୍କୁ କହିଲା, “ତୁମ୍ଭେମାନେ କୌଣସି ରୂପେ ମରିବ ନାହିଁ; 5ବରଞ୍ଚ ପରମେଶ୍ୱର ଜାଣନ୍ତି, ତୁମ୍ଭେମାନେ ଯେଉଁ ଦିନ ତାହା ଖାଇବ, ସେହି ଦିନ ତୁମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ ହେବ, ତହିଁରେ ତୁମ୍ଭେମାନେ ପରମେଶ୍ୱରଙ୍କ ପରି ଭଲ ଓ ମନ୍ଦର ଜ୍ଞାନ ପାଇବ।” 6ଏଥିରେ ନାରୀ ସେହି ବୃକ୍ଷକୁ ସୁଖାଦ୍ୟର ଉତ୍ପାଦକ ଓ ନୟନର ଲୋଭଜନକ ଓ ଜ୍ଞାନ ଦେବା ନିମିତ୍ତ ବାଞ୍ଛନୀୟ ଦେଖି ତହିଁରୁ ଫଳ ତୋଳି ଖାଇଲେ, ପୁଣି, ଆପଣା ସଙ୍ଗସ୍ଥ ସ୍ୱାମୀଙ୍କୁ ଦିଅନ୍ତେ, ସେ ମଧ୍ୟ ଖାଇଲେ। 7ତହିଁରେ ସେମାନଙ୍କ ଚକ୍ଷୁ ପ୍ରସନ୍ନ ହୁଅନ୍ତେ, ସେମାନେ ନିଜ ଉଲଙ୍ଗତାର ବୋଧ ପାଇ ଡିମ୍ବିରି ବୃକ୍ଷର ପତ୍ର ସିଁଇ ଘାଗରା ବନାଇଲେ। 8ତହୁଁ ଦିନାବସାନ ସମୟରେ ଉଦ୍ୟାନ ମଧ୍ୟରେ ଗମନାଗମନକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ରବ ଶୁଣି ଆଦମ ଓ ତାଙ୍କର ଭାର୍ଯ୍ୟା ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରୁ ଉଦ୍ୟାନସ୍ଥ ବୃକ୍ଷଗଣ ମଧ୍ୟରେ ଲୁଚିଲେ। 9ତହିଁରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଡାକି କହିଲେ, “ତୁମ୍ଭେ କେଉଁଠାରେ?” 10ସେ ଉତ୍ତର କଲେ, “ମୁଁ ଉଦ୍ୟାନ ମଧ୍ୟରେ ତୁମ୍ଭ ରବ ଶୁଣି ଆପଣା ଉଲଙ୍ଗତା ସକାଶେ ଭୀତ ହୋଇ ଲୁଚିଲି।” 11ପରମେଶ୍ୱର କହିଲେ, “ତୁମ୍ଭେ ଉଲଙ୍ଗ ଅଛ, ଏହା କିଏ ତୁମ୍ଭକୁ ଜଣାଇଲା? ଆମ୍ଭେ ଯେଉଁ ବୃକ୍ଷର ଫଳ ଖାଇବାକୁ ନିଷେଧ କରିଥିଲୁ, ତାହା କି ତୁମ୍ଭେ ଖାଇଅଛ?” 12ଆଦମ କହିଲେ, “ତୁମ୍ଭେ ଯେଉଁ ସ୍ତ୍ରୀଙ୍କୁ ମୋହର ସଙ୍ଗିନୀ ହେବାକୁ ଦେଇଅଛ, ସେ ମୋତେ ସେହି ବୃକ୍ଷର ଫଳ ଦେଲେ, ତହିଁରେ ମୁଁ ଖାଇଲି।” 13ସେତେବେଳେ ସଦାପ୍ରଭୁ ପରମେଶ୍ୱର ନାରୀଙ୍କୁ କହିଲେ, “ଏ କି କଲ?” ନାରୀ କହିଲେ, “ସର୍ପ ମୋତେ ଭୁଲାଇଲା, ତହିଁରେ ମୁଁ ଖାଇଲି।” 14ତହୁଁ ସଦାପ୍ରଭୁ ପରମେଶ୍ୱର ସର୍ପକୁ କହିଲେ, “ଏହି କାର୍ଯ୍ୟ କରିବା ହେତୁ ତୁମ୍ଭେ ସମସ୍ତ ଗ୍ରାମ୍ୟ ଓ ବନ୍ୟପଶୁଠାରୁ ଅଧିକ ଶାପଗ୍ରସ୍ତ ହେଲ, ତୁମ୍ଭେ ଆପଣା ପେଟ ଦେଇ ଗମନ କରିବ ଓ ଯାବଜ୍ଜୀବନ ଧୂଳି ଖାଇବ। 15ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।” 16ତହୁଁ ସେ ନାରୀଙ୍କୁ କହିଲେ, “ଆମ୍ଭେ ତୁମ୍ଭର ଗର୍ଭବେଦନା ଅତିଶୟ ବଢ଼ାଇବା, ତୁମ୍ଭେ ବ୍ୟଥାରେ ସନ୍ତାନ ପ୍ରସବ କରିବ; ପୁଣି, ସ୍ୱାମୀ ପ୍ରତି ତୁମ୍ଭର ବାସନା ରହିବ, ସେ ତୁମ୍ଭ ଉପରେ କର୍ତ୍ତୃତ୍ୱ କରିବ।” 17ଆଉ ସେ ଆଦମଙ୍କୁ କହିଲେ, “ଯେଉଁ ବୃକ୍ଷର ଫଳ ଖାଇବା ବିଷୟରେ ଆମ୍ଭେ ତୁମ୍ଭକୁ ଆଜ୍ଞା ଦେଇ କହିଥିଲୁ, ତାହା ଖାଇବ ନାହିଁ, ତୁମ୍ଭେ ଆପଣା ଭାର୍ଯ୍ୟାର କଥା ଶୁଣି ତାହା ଖାଇଅଛ; ଏଣୁ ତୁମ୍ଭ ସକାଶୁ ଭୂମି ଶାପଗ୍ରସ୍ତ ହେଲା; ତୁମ୍ଭେ ଯାବଜ୍ଜୀବନ କ୍ଳେଶରେ ତହିଁରୁ ଭକ୍ଷ୍ୟ ପାଇବ। 18ତହିଁରେ କଣ୍ଟା ଓ ଗୋଖରା ଗଛ ଜାତ ହେବ, ପୁଣି, ତୁମ୍ଭେ କ୍ଷେତ୍ରର ଶାକ ଭୋଜନ କରିବ। 19ତୁମ୍ଭେ ଯେଉଁ ମୃତ୍ତିକାରୁ ଗୃହୀତ ହେଲ, ତହିଁରେ ନ ମିଶିବା ପର୍ଯ୍ୟନ୍ତ ମୁଖର ଝାଳରେ ଆହାର କରିବ; ଯେହେତୁ ତୁମ୍ଭେ ଧୂଳି ଓ ଧୂଳିରେ ପୁନର୍ବାର ମିଶିଯିବ।” 20ଏଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟାର ନାମ ହବା ଦେଲେ, ଯେହେତୁ ସେ ଜୀବିତ ଲୋକମାନଙ୍କର ମାତା ହେଲେ।

ସନ୍ଧ୍ୟା ପ୍ରାର୍ଥନା: ପାଠ

ହିତୋ 3:19–34

19ସଦାପ୍ରଭୁ ଜ୍ଞାନରେ ପୃଥିବୀ ସ୍ଥାପନ କଲେ, ସେ ବୁଦ୍ଧିରେ ଆକାଶମଣ୍ଡଳ ସୁସ୍ଥିର କଲେ। 20ତାହାଙ୍କ ଜ୍ଞାନରେ ଗଭୀର ସ୍ଥାନରୁ ଜଳ ଉଚ୍ଛୁଳି ଉଠେ, ପୁଣି, ମେଘରୁ କାକର ଟୋପା ଟୋପା ପଡ଼େ। 21ହେ ମୋହର ପୁତ୍ର, ଏହିସବୁ ତୁମ୍ଭ ଦୃଷ୍ଟିଗୋଚରରୁ ନ ଯାଉ, ତୁମ୍ଭେ ତତ୍ତ୍ୱଜ୍ଞାନ ଓ ପରିଣାମଦର୍ଶିତା ରକ୍ଷା କର। 22ତାହା ତୁମ୍ଭ ପ୍ରାଣର ଜୀବନ ଓ କଣ୍ଠର ଭୂଷଣ ହେବ। 23ତେବେ ତୁମ୍ଭେ ଆପଣା ପଥରେ ନିର୍ଭୟରେ ଚାଲିବ, ପୁଣି, ତୁମ୍ଭର ଚରଣ ଝୁଣ୍ଟିବ ନାହିଁ। 24ଶୟନ କାଳରେ ତୁମ୍ଭର ଆଶଙ୍କା ହେବ ନାହିଁ, ହଁ, ତୁମ୍ଭେ ଶୟନ କରିବ ଓ ତୁମ୍ଭର ନିଦ୍ରା ସୁଖଜନକ ହେବ। 25ହଠାତ୍‍ ଉତ୍ପନ୍ନ ଆଶଙ୍କାକୁ କିଅବା ଦୁଷ୍ଟମାନଙ୍କ ଉପସ୍ଥିତ ବିନାଶକୁ ଭୟ କର ନାହିଁ। 26ଯେହେତୁ ସଦାପ୍ରଭୁ ତୁମ୍ଭର ବିଶ୍ୱାସଭୂମି ହେବେ, ସେ ତୁମ୍ଭର ପାଦ ଫାନ୍ଦରୁ ରକ୍ଷା କରିବେ। 27ଉପକାର କରିବାର ସାମର୍ଥ୍ୟ ତୁମ୍ଭ ହସ୍ତରେ ଥିଲେ, ଉଚିତ ଦାନପାତ୍ରମାନଙ୍କୁ ମନା କର ନାହିଁ। 28ଆପଣା ନିକଟରେ ଦ୍ରବ୍ୟ ଥିଲେ, ଯାଅ, ପୁନର୍ବାର ଆସ, ଆମ୍ଭେ କାଲି ଦେବା ଏହା ତୁମ୍ଭ ପ୍ରତିବାସୀକୁ କୁହ ନାହିଁ। 29ତୁମ୍ଭ ପ୍ରତିବାସୀ ତୁମ୍ଭ ନିକଟରେ ନିର୍ଭୟରେ ବାସ କରିବାରୁ ତାହାର ବିରୁଦ୍ଧରେ ଅନିଷ୍ଟ ଚିନ୍ତା କର ନାହିଁ। 30ମନୁଷ୍ୟ ତୁମ୍ଭର କ୍ଷତି ନ କଲେ, ଅକାରଣରେ ତାହା ସହିତ ବିରୋଧ କର ନାହିଁ। 31ଉପଦ୍ରବୀ ପ୍ରତି ଈର୍ଷା କର ନାହିଁ, ପୁଣି, ତାହାର କୌଣସି ପଥ ମନୋନୀତ କର ନାହିଁ। 32କାରଣ ଖଳ ଲୋକ ସଦାପ୍ରଭୁଙ୍କର ଘୃଣାପାତ୍ର; ମାତ୍ର ସରଳାଚାରୀମାନଙ୍କ ସଙ୍ଗେ ତାହାଙ୍କର ମିତ୍ରାଳାପ ଥାଏ। 33ପାପୀମାନଙ୍କ ଗୃହରେ ସଦାପ୍ରଭୁଙ୍କର ଅଭିଶାପ ଥାଏ, ମାତ୍ର ସେ ଧାର୍ମିକମାନଙ୍କ ନିବାସକୁ ଆଶୀର୍ବାଦ କରନ୍ତି। 34ଯଦ୍ୟପି ସେ ନିନ୍ଦକମାନଙ୍କୁ ନିନ୍ଦା କରନ୍ତି, ତଥାପି ସେ ନମ୍ର ଲୋକମାନଙ୍କୁ ଅନୁଗ୍ରହ ପ୍ରଦାନ କରନ୍ତି।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ମାର୍ଚ୍ଚ 6 ନାଗରିକ ପଞ୍ଜିକାର ମାର୍ଚ୍ଚ 19। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର