Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମାର୍ଚ୍ଚ 2027 › ମାର୍ଚ୍ଚ 22

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 22 ମାର୍ଚ୍ଚ 2027

ସୋମବାର · ପବିତ୍ର ସପ୍ତାହ

ପର୍ବ ଓ ସନ୍ଥ

ପବିତ୍ର ସପ୍ତାହର ସୋମବାର

ସାଧାରଣ ଦିନ · ଉପାସନାର ରଙ୍ଗ: ବାଇଗଣୀ

ଦିନର ପାଠ

ପ୍ରଥମ ପାଠ

ଯିଶା 42:1–7

1ଯାହାଙ୍କୁ ଆମ୍ଭେ ଧାରଣ କରୁ, ଏପରି ଆମ୍ଭ ଦାସଙ୍କୁ, ଯାହାଙ୍କଠାରେ ଆମ୍ଭ ଚିତ୍ତ ସନ୍ତୁଷ୍ଟ, ଏପରି ଆମ୍ଭର ମନୋନୀତ ଲୋକଙ୍କୁ ଦେଖ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ସ୍ଥାପନ କରିଅଛୁ; ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟକୁ ନ୍ୟାୟବିଚାର ଆଣିବେ। 2ସେ ଚିତ୍କାର କିମ୍ବା ଉଚ୍ଚ ଶବ୍ଦ କରିବେ ନାହିଁ, କିଅବା ରାଜପଥରେ ଆପଣା ରବ ଶୁଣାଇବେ ନାହିଁ। 3ସେ ଛେଚା-ନଳ ଭାଙ୍ଗିବେ ନାହିଁ ଓ ସଧୂମ ବଳିତା ଲିଭାଇବେ ନାହିଁ; ସେ ସତ୍ୟତାରେ ନ୍ୟାୟବିଚାର ଆଣିବେ। 4ସେ ପୃଥିବୀରେ ନ୍ୟାୟବିଚାର ସ୍ଥାପନ ନ କରିବା ପର୍ଯ୍ୟନ୍ତ ନିସ୍ତେଜ ଓ ହୀନସାହସ ହେବେ ନାହିଁ; ଆଉ, ଦ୍ୱୀପଗଣ ତାହାଙ୍କ ବ୍ୟବସ୍ଥାର ଅପେକ୍ଷାରେ ରହିବେ। 5ଯେ ଆକାଶମଣ୍ଡଳ ସୃଷ୍ଟି କରି ବିସ୍ତାର କଲେ; ଯେ ଭୂତଳ ଓ ତଦୁତ୍ପନ୍ନସକଳ ବିଛାଇଲେ; ଯେ ତହିଁ ଉପରିସ୍ଥ ସକଳ ଲୋକଙ୍କୁ ନିଶ୍ୱାସପ୍ରଶ୍ୱାସ ଦିଅନ୍ତି ଓ ତନ୍ମଧ୍ୟରେ ଗମନାଗମନକାରୀମାନଙ୍କୁ ପ୍ରାଣ ଦିଅନ୍ତି, ସେହି ସଦାପ୍ରଭୁ ପରମେଶ୍ୱର ଏହି କଥା କହନ୍ତି; 6“ଆମ୍ଭେ ସଦାପ୍ରଭୁ, ଧର୍ମରେ ତୁମ୍ଭକୁ ଆହ୍ୱାନ କରିଅଛୁ ଓ ତୁମ୍ଭର ହସ୍ତ ଧରି ତୁମ୍ଭକୁ ରକ୍ଷା କରିବୁ, ଆଉ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରିବା ପାଇଁ, ବନ୍ଦୀମାନଙ୍କୁ କାରାକୂପରୁ ଓ ଅନ୍ଧକାରରେ ବସିଥିବା ଲୋକମାନଙ୍କୁ ବନ୍ଦୀଗୃହରୁ ବାହାର କରି ଆଣିବା ପାଇଁ, 7ଆମ୍ଭେ ତୁମ୍ଭକୁ ଲୋକମାନଙ୍କର ନିୟମ ସ୍ୱରୂପ ଓ ଅନ୍ୟଦେଶୀୟମାନଙ୍କର ଦୀପ୍ତି ସ୍ୱରୂପ କରି ନିଯୁକ୍ତ କରିବୁ।

ପ୍ରତିଉତ୍ତର ଗୀତ

ଗୀତ 27:1–3, 13–14

1ଦାଉଦଙ୍କର ଗୀତ। ସଦାପ୍ରଭୁ ମୋହର ଦୀପ୍ତି ଓ ମୋହର ପରିତ୍ରାଣ; ମୁଁ କାହାକୁ ଭୟ କରିବି? ସଦାପ୍ରଭୁ ମୋʼ ଜୀବନର ବଳ; ମୁଁ କାହାଠାରୁ ଭୀତ ହେବି? 2ଦୁଷ୍କର୍ମକାରୀଗଣ ମୋହର ମାଂସ ଗ୍ରାସ କରିବା ପାଇଁ ମୋତେ ଆକ୍ରମଣ କରିବା ବେଳେ ମୋହର ସେହି ବିପକ୍ଷ ଓ ଶତ୍ରୁମାନେ ଝୁଣ୍ଟି ପତିତ ହେଲେ। 3ସୈନ୍ୟଦଳ ମୋʼ ବିରୁଦ୍ଧରେ ଛାଉଣି କଲେ ହେଁ ମୋହର ଅନ୍ତଃକରଣ ଭୟ କରିବ ନାହିଁ; ଯଦି ଯୁଦ୍ଧ ମୋʼ ବିରୁଦ୍ଧରେ ଉଠେ, ତେବେ ମଧ୍ୟ ମୁଁ ସାହସିକ ହେବି। 13ମୁଁ ଜୀବିତମାନଙ୍କ ଦେଶରେ ସଦାପ୍ରଭୁଙ୍କର ମଙ୍ଗଳଭାବ ଦେଖିବାକୁ ବିଶ୍ୱାସ କରି ନ ଥିଲେ, ମୂର୍ଚ୍ଛିତ ହୋଇଥାʼନ୍ତି। 14ସଦାପ୍ରଭୁଙ୍କର ସାହାଯ୍ୟ ନିମନ୍ତେ ଅପେକ୍ଷା କର; ବଳବାନ ହୁଅ ଓ ତୁମ୍ଭର ଅନ୍ତଃକରଣ ସାହସିକ ହେଉ; ହଁ, ତୁମ୍ଭେ ସଦାପ୍ରଭୁଙ୍କର ଅନୁସରଣ କର।

ସୁସମାଚାର

ଯୋହ 12:1–11

1ଇତିମଧ୍ୟରେ ଯୀଶୁ ନିସ୍ତାର ପର୍ବର ଛଅ ଦିନ ପୂର୍ବରୁ ବେଥନୀୟାକୁ ଆସିଲେ; ଯେଉଁ ଲାଜାରଙ୍କୁ ସେ ମୃତମାନଙ୍କ ମଧ୍ୟରୁ ଉଠାଇଥିଲେ, ସେ ସେହି ସ୍ଥାନରେ ଥିଲେ। 2ତେଣୁ ସେମାନେ ତାହାଙ୍କ ନିମନ୍ତେ ସେହି ସ୍ଥାନରେ ଗୋଟିଏ ରାତ୍ରିଭୋଜ ପ୍ରସ୍ତୁତ କଲେ; ମାର୍ଥା ପରିଚର୍ଯ୍ୟା କରୁଥିଲେ, ଆଉ ଯେଉଁମାନେ ତାହାଙ୍କ ସହିତ ଭୋଜନରେ ବସିଲେ, ଲାଜାର ସେମାନଙ୍କ ମଧ୍ୟରୁ ଜଣେ ଥିଲେ। 3ସେତେବେଳେ ମରୀୟମ ଅଧ ସେର ଅତି ବହୁମୂଲ୍ୟ ବିଶୁଦ୍ଧ ଜଟାମାଂସୀ ସୁଗନ୍ଧି ତୈଳ ଘେନି ଯୀଶୁଙ୍କ ପାଦରେ ତାହା ଲଗାଇ ଆପଣା କେଶରେ ତାହାଙ୍କ ପାଦ ପୋଛିଦେଲେ, ଆଉ ତୈଳର ସୁବାସରେ ଘରଟି ମହକିଗଲା। 4କିନ୍ତୁ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଇଷ୍କାରିୟୋତୀୟ ଯିହୂଦା ନାମକ ଯେଉଁ ଶିଷ୍ୟ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବାକୁ ଯାଉଥିଲା, ସେ କହିଲା, 5ଏହି ତୈଳ ତିନିଶହ ଦିନର ମଜୁରୀ ସମାନ ମୂଲ୍ୟରେ ବିକ୍ରୟ କରାଯାଇ କାହିଁକି ଦରିଦ୍ରମାନଙ୍କୁ ଦିଆ ନ ଗଲା? 6ସେ ଯେ ଦରିଦ୍ରମାନଙ୍କ ନିମନ୍ତେ ଚିନ୍ତା କରୁଥିଲା ବୋଲି ଏହା କହିଲା, ତାହା ନୁହେଁ, କିନ୍ତୁ ସେ ଜଣେ ଚୋର, ଆଉ ତାହା ନିକଟରେ ଟଙ୍କାଥଳୀ ଥିବାରୁ, ସେଥିରେ ଯାହା ଯାହା ରଖାଯାଉଥିଲା, ତାହା ସେ ଚୋରି କରି ନେଇଯାଉଥିଲା। 7ସେଥିରେ ଯୀଶୁ କହିଲେ, “ଏହାକୁ ଛାଡ଼ିଦିଅ, ଯେପରି ମୋହର ସମାଧି ଦିନ ନିମନ୍ତେ ସେ ଏହା ରଖି ପାରେ। 8ଦରିଦ୍ରମାନେ ତ ସର୍ବଦା ତୁମ୍ଭମାନଙ୍କ ନିକଟରେ ଅଛନ୍ତି, ମାତ୍ର ମୁଁ ସର୍ବଦା ତୁମ୍ଭମାନଙ୍କ ନିକଟରେ ନ ଥିବି।” 9ଇତିମଧ୍ୟରେ ବହୁସଂଖ୍ୟକ ଯିହୁଦୀ ଲୋକ ସେ ସେଠାରେ ଅଛନ୍ତି ବୋଲି ଜାଣି ପାରି କେବଳ ଯୀଶୁଙ୍କ ସକାଶେ ନୁହେଁ, ମାତ୍ର ଯେଉଁ ଲାଜାରଙ୍କୁ ସେ ମୃତମାନଙ୍କ ମଧ୍ୟରୁ ଉଠାଇଥିଲେ, ତାହାଙ୍କୁ ଦେଖିବା ନିମନ୍ତେ ମଧ୍ୟ ଆସିଲେ। 10କିନ୍ତୁ ଲାଜାରଙ୍କୁ ମଧ୍ୟ ବଧ କରିବା ନିମନ୍ତେ ପ୍ରଧାନ ଯାଜକମାନେ ମନ୍ତ୍ରଣା କଲେ, 11କାରଣ ତାହାଙ୍କ ଯୋଗୁଁ ଯିହୁଦୀମାନଙ୍କ ମଧ୍ୟରୁ ଅନେକେ ଯାଇ ଯୀଶୁଙ୍କଠାରେ ବିଶ୍ୱାସ କରୁଥିଲେ।

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର