Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମାର୍ଚ୍ଚ 2027 › ମାର୍ଚ୍ଚ 28

ଅର୍ଥୋଡକ୍ସ ପଞ୍ଜିକା · 15 ମାର୍ଚ୍ଚ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 28 ମାର୍ଚ୍ଚ 2027

ରବିବାର · ସ୍ୱର 2

ପର୍ବ ଓ ସନ୍ଥ

ମହା ଉପବାସର ଦ୍ୱିତୀୟ ରବିବାର

ମହା ଉପବାସ

ଉପବାସ: ତେଲ ସହିତ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପ୍ରଭାତୀ ପ୍ରାର୍ଥନାର ଦଶମ ସୁସମାଚାର

ଯୋହ 21:1–14

1ଏଥିଉତ୍ତାରେ ଯୀଶୁ ତିବିରୀୟା ହ୍ରଦର କୂଳରେ ଶିଷ୍ୟମାନଙ୍କୁ ପୁନର୍ବାର ଦର୍ଶନ ଦେଲେ। ସେ ଏହି ପ୍ରକାରେ ଦର୍ଶନ ଦେଲେ; 2ଶିମୋନ ପିତର, ଥୋମା, ଯାହାଙ୍କୁ ଦିଦୁମ କହନ୍ତି, ଗାଲିଲୀର କାନ୍ନାନିବାସୀ ନିଥନିୟେଲ, ଜେବଦୀଙ୍କ ପୁତ୍ରମାନେ ଓ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଆଉ ଦୁଇ ଜଣ ଏକତ୍ର ଥିଲେ। 3ଶିମୋନ ପିତର ସେମାନଙ୍କୁ କହିଲେ, ମୁଁ ମାଛ ଧରିବାକୁ ଯାଉଅଛି। ସେମାନେ ତାହାଙ୍କୁ କହିଲେ, ଆମ୍ଭେମାନେ ମଧ୍ୟ ତୁମ୍ଭ ସାଙ୍ଗରେ ଯିବୁ। ସେମାନେ ବାହାରିଯାଇ ନୌକାରେ ଚଢ଼ିଲେ, ଆଉ ସେହି ରାତିରେ କିଛି ଧରି ପାରିଲେ ନାହିଁ। 4କିନ୍ତୁ ପାହାନ୍ତା ହେଲା ଉତ୍ତାରେ ଯୀଶୁ କୂଳରେ ଠିଆ ହେଲେ; ତଥାପି ସେ ଯୀଶୁ ବୋଲି ଶିଷ୍ୟମାନେ ଜାଣିଲେ ନାହିଁ। 5ଯୀଶୁ ସେମାନଙ୍କୁ କହିଲେ, “ପିଲାମାନେ ତୁମ୍ଭମାନଙ୍କ ପାଖରେ କଅଣ କିଛି ଖାଇବାର ଅଛି?” ସେମାନେ ତାହାଙ୍କୁ ଉତ୍ତର ଦେଲେ, ନାହିଁ। 6ସେ ସେମାନଙ୍କୁ କହିଲେ, “ନୌକାର ଡାହାଣ ପାଖରେ ଜାଲ ପକାଅ, ଆଉ ତୁମ୍ଭେମାନେ ପାଇବ।” ସେଥିରେ ସେମାନେ ଜାଲ ପକାଇଲେ, ଆଉ ଏତେ ମାଛ ପଡ଼ିଲା ଯେ, ସେମାନେ ତାହା ଟାଣି ପାରିଲେ ନାହିଁ। 7ସେଥିରେ ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ, ସେ ପିତରଙ୍କୁ କହିଲେ, ଏ ତ ପ୍ରଭୁ। ଶିମୋନ ପିତର ଏ ତ ପ୍ରଭୁ ବୋଲି ଶୁଣି ଅଙ୍ଗରଖା ନ ପିନ୍ଧି ଥିବାରୁ ଆପଣା ଅଙ୍ଗରଖା ପିନ୍ଧି ସମୁଦ୍ରକୁ ଡେଇଁପଡ଼ିଲେ; 8କିନ୍ତୁ ଅନ୍ୟ ଶିଷ୍ୟମାନେ ନୌକାରେ ଭର୍ତ୍ତି ହୋଇଥିବା ମାଛର ଜାଲ ଟାଣି ଟାଣି ନୌକାକୁ ଆସିଲେ, କାରଣ ସେମାନେ କୂଳରୁ ଅଧିକ ଦୂରରେ ନ ଥିଲେ, କେବଳ ପ୍ରାୟ ଦୁଇ ଶହ ହାତ ଦୂରରେ ଥିଲେ। 9ସେମାନେ କୂଳରେ ଓହ୍ଲାଇ ସେଠାରେ ଅଙ୍ଗାରର ନିଆଁ, ପୁଣି, ତାହା ଉପରେ ଭଜା ମାଛ ଓ ରୁଟି ଥୁଆ ହୋଇଥିବା ଦେଖିଲେ। 10ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଏବେ ଯେଉଁ ମାଛ ଧରିଅଛ, ସେଥିରୁ କିଛି ଆଣ।” 11ଶିମୋନ ପିତର ଯାଇ ଏକ ଶହ ତେପନ ବଡ଼ ବଡ଼ ମାଛରେ ଭର୍ତ୍ତି ହୋଇଥିବା ଜାଲ କୂଳକୁ ଟାଣି ଆଣିଲେ; ଆଉ ଏତେ ମାଛରେ ସୁଦ୍ଧା ଜାଲ ଛିଣ୍ଡିଲା ନାହିଁ। 12ଯୀଶୁ ସେମାନଙ୍କୁ କହିଲେ, “ଆସି ଭୋଜନ କର।” ଶିଷ୍ୟମାନଙ୍କ ମଧ୍ୟରୁ କେହି ତୁମ୍ଭେ କିଏ ବୋଲି ତାହାଙ୍କୁ ପଚାରିବାକୁ ସାହସ କରୁ ନ ଥିଲେ, କାରଣ ସେ ଯେ ପ୍ରଭୁ, ଏହା ସେମାନେ ଜାଣିଥିଲେ। 13ଯୀଶୁ ଆସି ରୁଟି ଘେନି ସେମାନଙ୍କୁ ଦେଲେ, ଆଉ ସେହି ପ୍ରକାରେ ମାଛ ମଧ୍ୟ ଦେଲେ। 14ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହେଲା ଉତ୍ତାରେ ଯୀଶୁ ଶିଷ୍ୟମାନଙ୍କୁ ଏହି ତୃତୀୟ ଥର ଦର୍ଶନ ଦେଲେ।

ପତ୍ର

ଏବ୍ରୀ 1:10–2:3

10ଆହୁରି, “ହେ ପ୍ରଭୁ, ତୁମ୍ଭେ ଆରମ୍ଭରୁ ହିଁ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛ, ପୁଣି, ଆକାଶମଣ୍ଡଳ ତୁମ୍ଭ ହସ୍ତକୃତ କର୍ମ।” 11“ସେହି ସବୁ ବିନଷ୍ଟ ହେବ, କିନ୍ତୁ ତୁମ୍ଭେ ଚିରସ୍ଥାୟୀ; ଆଉ ସେହିସବୁ ବସ୍ତ୍ର ପରି କ୍ଷୟ ପାଇଯିବ,” 12“ପୁଣି, ତୁମ୍ଭେ ଚାଦର ପରି, ହଁ ବସ୍ତ୍ର ପରି ସେହିସବୁ ଗୁଡ଼ାଇବ, ଆଉ ସେହିସବୁ ପରିବର୍ତ୍ତିତ ହେବ। କିନ୍ତୁ ତୁମ୍ଭେ ସର୍ବଦା ସମାନ, ପୁଣି, ତୁମ୍ଭର ବର୍ଷସମୂହ କେବେ ଶେଷ ହେବ ନାହିଁ।” 13ଆଉ “ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ, ତୁମ୍ଭର ପାଦପୀଠ କରି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ,” ଏହା ସେ ଦୂତମାନଙ୍କ ମଧ୍ୟରେ କାହାକୁ କେବେ କହିଅଛନ୍ତି? 14ଏମାନେ ସମସ୍ତେ କଅଣ ସେବାକାରୀ ଆତ୍ମା ନୁହଁନ୍ତି, ପୁଣି, ପରିତ୍ରାଣର ଭାବି ଅଧିକାରୀମାନଙ୍କର ସେବା କରିବାକୁ କି ସେମାନେ ପ୍ରେରିତ ହୋଇ ନାହାନ୍ତି? 2:1ଅତଏବ, ଶୁଣାଯାଇଥିବା ସତ୍ୟ ବାକ୍ୟ ପ୍ରତି ଅଧିକ ମନୋଯୋଗୀ ହେବା ଆମ୍ଭମାନଙ୍କର ଉଚିତ, ନୋହିଲେ କାଳେ ଆମ୍ଭେମାନେ ଲକ୍ଷ୍ୟଭ୍ରଷ୍ଟ ହେବୁ। 2କାରଣ ଦୂତମାନଙ୍କ ଦ୍ୱାରା କଥିତ ବାକ୍ୟ ଯଦି ଅଟଳ ହୋଇ ରହିଲା, ଆଉ ପ୍ରତ୍ୟେକ ଆଜ୍ଞାଲଙ୍ଘନ ଓ ଅବାଧ୍ୟତା ଯଥାର୍ଥ ଦଣ୍ଡ ପାଇଲା, 3ତେବେ ଏପରି ମହାପରିତ୍ରାଣ ଅବହେଳା କଲେ ଆମ୍ଭେମାନେ କିପରି ରକ୍ଷା ପାଇବା? ତାହା ତ ପ୍ରଥମରେ ପ୍ରଭୁଙ୍କ ଦ୍ୱାରା କଥିତ ହୋଇ ଶ୍ରବଣ କରିଥିବା ବ୍ୟକ୍ତିମାନଙ୍କ ଦ୍ୱାରା ଆମ୍ଭମାନଙ୍କ ନିକଟରେ ପ୍ରମାଣସିଦ୍ଧ ହେଲା;

ପତ୍ର (ସନ୍ଥ ଗ୍ରେଗୋରୀଙ୍କ ପାଇଁ)

ଏବ୍ରୀ 7:26–8:2

26କାରଣ ଏହି ପ୍ରକାର ମହାଯାଜକ ଆମ୍ଭମାନଙ୍କ ପକ୍ଷରେ ଉପଯୁକ୍ତ, ଯେ କି ପବିତ୍ର, ନିର୍ଦ୍ଦୋଷ, ନିଷ୍କଳଙ୍କ, ପାପୀମାନଙ୍କଠାରୁ ପୃଥକୀକୃତ, ପୁଣି, ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ। 27ସେହି ମହାଯାଜକମାନଙ୍କ ସଦୃଶ ପ୍ରତିଦିନ ପ୍ରଥମରେ ଆପଣାର ପାପ ପାଇଁ ଓ ପରେ ଲୋକମାନଙ୍କ ପାପ ପାଇଁ ବଳି ଉତ୍ସର୍ଗ କରିବା ତାହାଙ୍କର ଆବଶ୍ୟକ ନୁହେଁ, କାରଣ ଆପଣାକୁ ଉତ୍ସର୍ଗ କରିବା ଦ୍ୱାରା ସେ ଏକାଥରକେ ଏହା କରିଅଛନ୍ତି। 28ଯେଣୁ ମୋଶାଙ୍କ ବ୍ୟବସ୍ଥା ଦୁର୍ବଳତାବିଶିଷ୍ଟ ମନୁଷ୍ୟକୁ ମହାଯାଜକ ପଦରେ ନିଯୁକ୍ତ କରେ, କିନ୍ତୁ ଯେଉଁ ଶପଥବାକ୍ୟ ମୋଶାଙ୍କ ବ୍ୟବସ୍ଥା ପରେ ହୋଇଥିଲା, ତାହା ଅନନ୍ତକାଳ ପର୍ଯ୍ୟନ୍ତ ସିଦ୍ଧିପ୍ରାପ୍ତ ଈଶ୍ବରଙ୍କ ପୁତ୍ରଙ୍କୁ ନିଯୁକ୍ତ କରେ। 8:1ଆମ୍ଭେମାନେ ଯାହା କହୁଅଛୁ, ସେଥିର ପ୍ରଧାନ ବିଷୟ ଏହି, ଆମ୍ଭମାନଙ୍କର ଏପରି ଜଣେ ମହାଯାଜକ ଅଛନ୍ତି, ଯେ ସ୍ୱର୍ଗରେ ମହାମହିମଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି; 2ସେ ମହାପବିତ୍ର ସ୍ଥାନର ପୁଣି, ଯେଉଁ ଯଥାର୍ଥ ତମ୍ବୁ ମନୁଷ୍ୟ ଦ୍ୱାରା ସ୍ଥାପିତ ନ ହୋଇ ପ୍ରଭୁଙ୍କ ଦ୍ୱାରା ସ୍ଥାପିତ ହୋଇଅଛି, ସେଥିର ସେବକ ଅଟନ୍ତି।

ସୁସମାଚାର

ମାର୍କ 2:1–12

1କେତେକ ଦିନ ଉତ୍ତାରେ ଯୀଶୁ ପୁନର୍ବାର କଫର୍ନାହୂମରେ ପ୍ରବେଶ କରନ୍ତେ ସେ ଗୃହରେ ଅଛନ୍ତି ବୋଲି ଜନରବ ହେଲା। 2ସେଥିରେ ଏତେ ଲୋକ ଏକତ୍ର ହେଲେ ଯେ, ଦ୍ୱାର ପାଖରେ ସୁଦ୍ଧା ଆଉ ସ୍ଥାନ ରହିଲା ନାହିଁ, ପୁଣି, ସେ ସେମାନଙ୍କ ନିକଟରେ ବାକ୍ୟ ପ୍ରଚାର କରିବାକୁ ଲାଗିଲେ। 3ଇତିମଧ୍ୟରେ ଲୋକେ ଜଣେ ପକ୍ଷାଘାତ ରୋଗୀକୁ ଚାରି ଜଣଙ୍କ ଦ୍ୱାରା ବୁହାଇ ତାହାଙ୍କ ନିକଟକୁ ଘେନି ଆସିଲେ, 4କିନ୍ତୁ ଭିଡ଼ ହେତୁ ତାହାଙ୍କ ପାଖକୁ ଆଣି ନ ପାରିବାରୁ, ସେ ଯେଉଁ ସ୍ଥାନରେ ଥିଲେ, ସେହି ସ୍ଥାନର ଛାତ ଖୋଳି କାଢ଼ିପକାଇଲେ, ଆଉ ତାହା ଭାଙ୍ଗି, ଯେଉଁ ଖଟିଆରେ ପକ୍ଷାଘାତ ରୋଗୀଟି ଶୋଇଥିଲା, ତାହା ଓହ୍ଲାଇଦେଲେ। 5ଯୀଶୁ ସେମାନଙ୍କର ବିଶ୍ୱାସ ଦେଖି ସେହି ପକ୍ଷାଘାତ ରୋଗୀକୁ କହିଲେ, “ବତ୍ସ, ତୁମ୍ଭର ପାପସବୁ କ୍ଷମା କରାଗଲା।” 6କିନ୍ତୁ ଶାସ୍ତ୍ରୀମାନଙ୍କ ମଧ୍ୟରୁ କେତେକ ସେ ସ୍ଥାନରେ ବସି ଆପଣା ଆପଣା ମନରେ ଏହା ତର୍କବିତର୍କ କରୁଥିଲେ, 7ଏ ଲୋକ କାହିଁକି ଏପରି କହୁଅଛି? ସେ ଈଶ୍ବର ନିନ୍ଦା କରୁଅଛି; କେବଳ ଜଣଙ୍କ ବିନା, ଅର୍ଥାତ୍‍ ଈଶ୍ବରଙ୍କ ବିନା ଆଉ କିଏ ପାପ କ୍ଷମା କରିପାରେ? 8ସେମାନେ ଯେ ମନେ ମନେ ଏପରି ତର୍କବିତର୍କ କରୁଅଛନ୍ତି, ତାହା ଯୀଶୁ ନିଜ ଆତ୍ମାରେ ସେହିକ୍ଷଣି ଜ୍ଞାତ ହୋଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ଆପଣା ମନରେ କାହିଁକି ଏହି ସମସ୍ତ ତର୍କବିତର୍କ କରୁଅଛ? 9କଅଣ ସହଜ? ପକ୍ଷାଘାତ ରୋଗୀକୁ ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା, କିଅବା, ଉଠ, ତୁମ୍ଭର ଖଟିଆ ଘେନି ଚାଲ ବୋଲି କହିବା? 10କିନ୍ତୁ ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର,” ଏଥିପାଇଁ ସେ ପକ୍ଷାଘାତ ରୋଗୀକୁ କହିଲେ, 11“ମୁଁ ତୁମ୍ଭକୁ କହୁଅଛି, ଉଠ; ନିଜ ଖଟିଆ ଘେନି ଆପଣା ଘରକୁ ଚାଲିଯାଅ।” 12ସେଥିରେ ସେ ଉଠି ତତ୍‌କ୍ଷଣାତ୍ ଖଟିଆ ଘେନି ସମସ୍ତଙ୍କ ସାକ୍ଷାତରେ ବାହାରିଗଲା; ତହିଁରେ ସମସ୍ତେ ଆଚମ୍ଭିତ ହୋଇ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ କରୁ କହିଲେ, ଆମ୍ଭେମାନେ ଏପରି କେବେ ହେଁ ଦେଖି ନ ଥିଲୁ।

ସୁସମାଚାର (ସନ୍ଥ ଗ୍ରେଗୋରୀଙ୍କ ପାଇଁ)

ଯୋହ 10:9–16

9ମୁଁ ଦ୍ୱାର, ଯଦି କେହି ମୋʼ ଦେଇ ପ୍ରବେଶ କରେ, ତାହାହେଲେ ସେ ରକ୍ଷା ପାଇବ ଏବଂ ଭିତରକୁ ଆସି ଓ ବାହାରକୁ ଯାଇ ଚରା ପାଇବ। 10ଚୋର କେବଳ ଚୋରି, ବଧ ଓ ବିନାଶ କରିବା ନିମନ୍ତେ ଆସେ; ସେମାନେ ଯେପରି ଜୀବନ ପାଆନ୍ତି ଓ ପ୍ରଚୁର ଭାବରେ ପାଆନ୍ତି, ଏଥିନିମନ୍ତେ ମୁଁ ଆସିଅଛି। 11ମୁଁ ଉତ୍ତମ ମେଷପାଳକ; ଉତ୍ତମ ମେଷପାଳକ ମେଷଗୁଡ଼ିକ ନିମନ୍ତେ ଆପଣା ପ୍ରାଣ ଦିଏ। 12ଯେ ମେଷପାଳକ ନୁହେଁ, ମାତ୍ର ମୂଲିଆ, ମେଷଗୁଡ଼ିକ ଯାହାର ନିଜର ନୁହଁନ୍ତି, ସେ ବାଘ ଆସିବା ଦେଖି ମେଷଗୁଡ଼ିକୁ ଛାଡ଼ି ପଳାଏ (ଆଉ ବାଘ ସେମାନଙ୍କୁ ଧରି ଛିନ୍ନଭିନ୍ନ କରେ), 13କାରଣ ସେ ମୂଲିଆ ଓ ମେଷଗୁଡ଼ିକ ନିମନ୍ତେ ଚିନ୍ତା କରେ ନାହିଁ। 14ମୁଁ ଉତ୍ତମ ମେଷପାଳକ। ପିତା ଯେପରି ମୋତେ ଜାଣନ୍ତି ଓ ମୁଁ ପିତାଙ୍କୁ ଜାଣେ, 15ସେହିପରି ମୁଁ ମୋʼ ନିଜର ମେଷଗୁଡ଼ିକୁ ଜାଣେ, ଆଉ ମୋʼ ନିଜର ମେଷଗୁଡ଼ିକ ମୋତେ ଜାଣନ୍ତି, ପୁଣି, ମେଷଗୁଡ଼ିକ ନିମନ୍ତେ ମୁଁ ମୋହର ପ୍ରାଣ ଦିଏ। 16ଯେଉଁ ମେଷଗୁଡ଼ିକ ଏହି ମେଷଶାଳାର ନୁହଁନ୍ତି, ମୋହର ଏପରି ଅନ୍ୟ ମେଷଗୁଡ଼ିକ ଅଛନ୍ତି, ସେମାନଙ୍କୁ ମଧ୍ୟ ମୋତେ ଆଣିବାକୁ ହେବ, ପୁଣି, ସେମାନେ ମୋହର ସ୍ୱର ଶୁଣିବେ; ସେଥିରେ ଗୋଟିଏ ପଲ ଓ ଗୋଟିଏ ପାଳକ ହେବେ।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ମାର୍ଚ୍ଚ 15 ନାଗରିକ ପଞ୍ଜିକାର ମାର୍ଚ୍ଚ 28। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର