Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମାର୍ଚ୍ଚ 2027 › ମାର୍ଚ୍ଚ 31

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 31 ମାର୍ଚ୍ଚ 2027

ବୁଧବାର · ପାସ୍କା ଅଷ୍ଟାହ

ପର୍ବ ଓ ସନ୍ଥ

ପାସ୍କା ଅଷ୍ଟାହର ବୁଧବାର

ମହାପର୍ବ · ଉପାସନାର ରଙ୍ଗ: ଧଳା

ଦିନର ପାଠ

ପ୍ରଥମ ପାଠ

ପ୍ରେରି 3:1–10

1ଦିନେ ପ୍ରାର୍ଥନାର ନିର୍ଦ୍ଧିଷ୍ଟ ସମୟରେ, ଅର୍ଥାତ୍‍ ଅପରାହ୍ନ ତିନି ଘଣ୍ଟା ବେଳେ ପିତର ଓ ଯୋହନ ମନ୍ଦିରକୁ ଯାଉଥିଲେ। 2ଏପରି ସମୟରେ ମାତୃଗର୍ଭରୁ ଖଞ୍ଜ ଜଣେ ଲୋକ ବୁହା ହୋଇ ଯାଉଥିଲା। ମନ୍ଦିରରେ ପ୍ରବେଶ କରୁଥିବା ଲୋକମାନଙ୍କଠାରୁ ଭିକ୍ଷା ମାଗିବା ନିମନ୍ତେ ଲୋକେ ତାହାକୁ ପ୍ରତିଦିନ ସେଥିର ସୁନ୍ଦର ନାମକ ଦ୍ୱାରରେ ରଖିଦେଉଥିଲେ। 3ସେ ପିତର ଓ ଯୋହନଙ୍କୁ ମନ୍ଦିରରେ ପ୍ରବେଶ କରିବାକୁ ଯାଉଥିବା ଦେଖି ଭିକ୍ଷା ମାଗିବାକୁ ଲାଗିଲା 4ପିତର ଓ ଯୋହନ ତାହା ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁଲେ, ପୁଣି, ପିତର କହିଲେ, “ଆମ୍ଭମାନଙ୍କ ଆଡ଼କୁ ଚାହଁ।” 5ସେଥିରେ ସେ ସେମାନଙ୍କଠାରୁ କିଛି ପାଇବା ଆଶାରେ ସେମାନଙ୍କ ଆଡ଼କୁ ଚାହିଁ ରହିଲା। 6କିନ୍ତୁ ପିତର କହିଲେ, ରୂପା କି ସୁନା ମୋହର ନାହିଁ; ମାତ୍ର ମୋହର ଯାହା ଅଛି, ତାହା ମୁଁ ତୁମ୍ଭକୁ ଦେଉଅଛି; ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଚାଲ। 7ପୁଣି, ସେ ତାହାର ଡାହାଣ ହାତ ଧରି ତାହାକୁ ଉଠାଇଲେ; ସେଥିରେ ସେହିକ୍ଷଣି ତାହାର ପାଦ ଓ ଗୋଡ଼ର ଗଣ୍ଠିସବୁ ବଳ ପାଇଲା, 8ଆଉ ସେ କୁଦା ମାରି ଠିଆ ହେଲା; ପୁଣି, ଚାଲିବାକୁ ଲାଗିଲା; ଆଉ, ସେ ଚାଲୁ ଚାଲୁ ଓ କୁଦା ମାରୁ ମାରୁ, ପୁଣି, ଈଶ୍ବରଙ୍କର ପ୍ରଶଂସା କରୁ କରୁ ସେମାନଙ୍କ ସହିତ ମନ୍ଦିରରେ ପ୍ରବେଶ କଲା। 9ସେଥିରେ ଲୋକ ସମସ୍ତେ ତାହାକୁ ଚାଲିବା ଓ ଈଶ୍ବରଙ୍କ ପ୍ରଶଂସା କରିବା ଦେଖିଲେ, 10ଆଉ ଯେଉଁ ଜଣକ ମନ୍ଦିରର ସୁନ୍ଦର-ଦ୍ୱାର ନିକଟରେ ବସି ଭିକ୍ଷା ମାଗୁଥିଲା, ଏ ସେହି ଲୋକ ବୋଲି ସେମାନେ ଚିହ୍ନିଲେ, ପୁଣି, ତାʼ ପ୍ରତି ଯାହା ଘଟିଥିଲା, ତାହା ଦେଖି ସେମାନେ ଅତିଶୟ ବିସ୍ମୟାପନ୍ନ ଓ ଆଚମ୍ଭିତ ହେଲେ।

ପ୍ରତିଉତ୍ତର ଗୀତ

ଗୀତ 105:1–4, 6–9

1ସଦାପ୍ରଭୁଙ୍କର ଧନ୍ୟବାଦ କର, ତାହାଙ୍କ ନାମରେ ପ୍ରାର୍ଥନା କର, ଗୋଷ୍ଠୀବର୍ଗ ମଧ୍ୟରେ ତାହାଙ୍କ କ୍ରିୟାସକଳ ଜଣାଅ। 2ତାହାଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; ତୁମ୍ଭେମାନେ ତାହାଙ୍କର ସକଳ ଆଶ୍ଚର୍ଯ୍ୟକ୍ରିୟା ବିଷୟରେ କଥୋପକଥନ କର। 3ତୁମ୍ଭେମାନେ ତାହାଙ୍କ ପବିତ୍ର ନାମରେ ଦର୍ପ କର; ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କ ଚିତ୍ତ ଆନନ୍ଦିତ ହେଉ। 4ତୁମ୍ଭେମାନେ ସଦାପ୍ରଭୁଙ୍କର ଓ ତାହାଙ୍କ ପରାକ୍ରମର ଅନ୍ୱେଷଣ କର; ସଦାସର୍ବଦା ତାହାଙ୍କ ମୁଖ ଅନ୍ୱେଷଣ କର। 6ତୁମ୍ଭେମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକର୍ମ, ତାହାଙ୍କ ଅଦ୍ଭୁତ ଲକ୍ଷଣ ଓ ତାହାଙ୍କ ମୁଖନିର୍ଗତ ଶାସନସକଳ ସ୍ମରଣ କର। 7ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି; ତାହାଙ୍କର ଶାସନ ସମୁଦାୟ ପୃଥିବୀରେ ପ୍ରଚଳିତ। 8ସେ ଆପଣା ନିୟମ, ଅର୍ଥାତ୍‍, ଯେଉଁ ବାକ୍ୟ ସେ ସହସ୍ର ପୁରୁଷ-ପରମ୍ପରା ପ୍ରତି ଆଦେଶ କରିଥିଲେ, 9ଯେଉଁ ନିୟମ ସେ ଅବ୍ରହାମ ସଙ୍ଗେ କରିଥିଲେ ଓ ଆପଣାର ଯେଉଁ ଶପଥ ସେ ଇସ୍‌ହାକ ନିକଟରେ କରିଥିଲେ, ତାହା ସେ ସଦାକାଳ ସ୍ମରଣ କରିଅଛନ୍ତି।

ସୁସମାଚାର

ଲୂକ 24:13–35

13ଆଉ ଦେଖ, ସେହି ଦିନ ସେମାନଙ୍କ ମଧ୍ୟରୁ ଦୁଇ ଜଣ ଯିରୂଶାଲମଠାରୁ ପ୍ରାୟ ସାତ ମାଇଲ୍ ଦୂରବର୍ତ୍ତୀ ଇମ୍ମାୟୁ ଗ୍ରାମକୁ ଯାଉଥିଲେ 14ଓ ଏହି ସମସ୍ତ ଘଟଣା ବିଷୟରେ ପରସ୍ପର କଥାବାର୍ତ୍ତା କରୁଥିଲେ। 15ସେମାନେ କଥାବାର୍ତ୍ତା ଓ ବାଦାନୁବାଦ କରୁଥିବା ସମୟରେ ଯୀଶୁ ଆପେ ସେମାନଙ୍କ ନିକଟକୁ ଆସି ସେମାନଙ୍କ ସଙ୍ଗେ ସଙ୍ଗେ ଗମନ କରିବାକୁ ଲାଗିଲେ; 16କିନ୍ତୁ ସେମାନଙ୍କର ଚକ୍ଷୁ ଏପରି ରୁଦ୍ଧ ହୋଇଥିଲା ଯେ, ସେମାନେ ତାହାଙ୍କୁ ଚିହ୍ନି ପାରିଲେ ନାହିଁ। 17ସେ ସେମାନଙ୍କୁ ପଚାରିଲେ, “ତୁମ୍ଭେମାନେ ଚାଲୁ ଚାଲୁ ଯେଉଁ ସମସ୍ତ ବିଷୟ ପରସ୍ପର କଥାବାର୍ତ୍ତା କରୁଅଛ, ସେ ସବୁ କଅଣ?” ସେଥିରେ ସେମାନେ ବିଷଣ୍ଣ ମୁଖରେ ଠିଆ ହୋଇ ରହିଲେ। 18ଆଉ ସେମାନଙ୍କ ମଧ୍ୟରୁ କ୍ଲେୟପା ନାମକ ଜଣେ ତାହାଙ୍କୁ ଉତ୍ତର ଦେଲେ, ଯିରୂଶାଲମସ୍ଥ ପ୍ରବାସୀମାନଙ୍କ ମଧ୍ୟରୁ ଆପଣ କଅଣ ଏକାକୀ ସେ ସ୍ଥାନର ଏ କେତେକ ଦିନର ଘଟଣା ଜାଣନ୍ତି ନାହିଁ? 19ସେ ସେମାନଙ୍କୁ ପଚାରିଲେ, “କି କି ପ୍ରକାର ଘଟଣା?” ସେମାନେ ତାହାଙ୍କୁ କହିଲେ, ନାଜରିତୀୟ ଯୀଶୁଙ୍କ ବିଷୟ; ସେ ଈଶ୍ବର ଓ ସମସ୍ତ ଲୋକଙ୍କ ଦୃଷ୍ଟିରେ କର୍ମରେ ଓ ବାକ୍ୟରେ ଜଣେ ଶକ୍ତିଶାଳୀ ଭାବବାଦୀ ଥିଲେ, 20ଆଉ, ଆମ୍ଭମାନଙ୍କର ପ୍ରଧାନ ଯାଜକ ଓ ଅଧ୍ୟକ୍ଷମାନେ କିପରି ତାହାଙ୍କୁ ପ୍ରାଣଦଣ୍ଡ ଭୋଗିବାକୁ ସମର୍ପଣ କରି ତାହାଙ୍କୁ କ୍ରୁଶରେ ବଧ କଲେ, ଏହି ସମସ୍ତ ବିଷୟ। 21କିନ୍ତୁ ଯେ ଇସ୍ରାଏଲକୁ ମୁକ୍ତ କରିବେ, ସେ ଯେ ଏହି ବ୍ୟକ୍ତି, ତାହା ଆମ୍ଭେମାନେ ଆଶା କରିଥିଲୁ; ମାତ୍ର ଏହା ଛଡ଼ା ଏସମସ୍ତ ଘଟିବାର ଆଜିକି ତିନି ଦିନ ହେଲା। 22ଆହୁରି ମଧ୍ୟ ଆମ୍ଭମାନଙ୍କ ମଧ୍ୟରୁ କେତେକ ସ୍ତ୍ରୀଲୋକ ଆମ୍ଭମାନଙ୍କୁ ଆଚମ୍ଭିତ କରିଅଛନ୍ତି; ସେମାନେ ପ୍ରତ୍ୟୁଷରେ ସମାଧି ନିକଟକୁ ଯାଇଥିଲେ 23ଆଉ, ତାହାଙ୍କ ଶରୀର ନ ପାଇ ଆସି କହିଲେ ଯେ, ସେମାନେ ଦୂତମାନଙ୍କର ଦର୍ଶନ ମଧ୍ୟ ପାଇଅଛନ୍ତି ଓ ସେହି ଦୂତମାନେ କହିଲେ ଯେ, ସେ ଜୀବିତ ଅଛନ୍ତି। 24ଆଉ, ଆମ୍ଭମାନଙ୍କ ସଙ୍ଗୀମାନଙ୍କ ମଧ୍ୟରୁ କେହି କେହି ସମାଧି ନିକଟକୁ ଯାଇ, ସ୍ତ୍ରୀଲୋକମାନେ ଯେପରି କହିଥିଲେ, ସେପରି ଦେଖିଲେ, କିନ୍ତୁ ଯୀଶୁଙ୍କୁ ଦେଖିଲେ ନାହିଁ। 25ସେଥିରେ ସେ ସେମାନଙ୍କୁ କହିଲେ, “ହେ ନିର୍ବୋଧମାନେ ଓ ଭାବବାଦୀମାନଙ୍କ ଦ୍ୱାରା କଥିତ ସମସ୍ତ ବାକ୍ୟରେ ବିଶ୍ୱାସ କରିବାକୁ ଶିଥିଳଚିତ୍ତମାନେ, 26ଏହି ସମସ୍ତ ଦୁଃଖଭୋଗ କରି ଆପଣା ମହିମାରେ ପ୍ରବେଶ କରିବା କଅଣ ଖ୍ରୀଷ୍ଟଙ୍କର ଆବଶ୍ୟକ ନ ଥିଲା?” 27ପୁଣି, ମୋଶା ଓ ସମସ୍ତ ଭାବବାଦୀଙ୍କଠାରୁ ଆରମ୍ଭ କରି ସମସ୍ତ ଧର୍ମଶାସ୍ତ୍ରରେ ଆପଣା ସମ୍ବନ୍ଧୀୟ କଥା ସେ ସେମାନଙ୍କୁ ବୁଝାଇଦେଲେ। 28ଆଉ ସେମାନେ ଯେଉଁ ଗ୍ରାମକୁ ଯାଉଥିଲେ, ସେଥିର ନିକଟବର୍ତ୍ତୀ ହୁଅନ୍ତେ ସେ ଆହୁରି ଆଗକୁ ଯିବାର ଭାବ ଦେଖାଇଲେ। 29କିନ୍ତୁ ସେମାନେ ତାହାଙ୍କୁ ବଳାଇ କହିଲେ, ଆମ୍ଭମାନଙ୍କ ସାଙ୍ଗରେ ରହନ୍ତୁ, କାରଣ ସନ୍ଧ୍ୟା ହୋଇ ଆସୁଅଛି ଓ ବେଳ ଗଡ଼ିଗଲାଣି। ସେଥିରେ ସେ ସେମାନଙ୍କ ସହିତ ରହିବାକୁ ଘର ଭିତରକୁ ଗଲେ। 30ଆଉ ସେମାନଙ୍କ ସହିତ ଭୋଜନରେ ବସିଲା ଉତ୍ତାରେ ସେ ରୁଟି ଘେନି ଆଶୀର୍ବାଦ କଲେ, ପୁଣି, ତାହା ଭାଙ୍ଗି ସେମାନଙ୍କୁ ଦେବାକୁ ଲାଗିଲେ। 31ତହିଁରେ ସେମାନଙ୍କ ଚକ୍ଷୁ ଉନ୍ମୁକ୍ତ ହେଲା ଓ ସେମାନେ ତାହାଙ୍କୁ ଚିହ୍ନିଲେ; ଆଉ ସେ ସେମାନଙ୍କ ଦୃଷ୍ଟିରୁ ଅନ୍ତର୍ହିତ ହେଲେ। 32ସେଥିରେ ସେମାନେ ପରସ୍ପର କହିଲେ, ଯେତେବେଳେ ପଥ ମଧ୍ୟରେ ସେ ଆମ୍ଭମାନଙ୍କ ସାଙ୍ଗରେ କଥାବାର୍ତ୍ତା କରୁଥିଲେ ଓ ଆମ୍ଭମାନଙ୍କୁ ଧର୍ମଶାସ୍ତ୍ର ବୁଝାଉଥିଲେ, ସେତେବେଳେ କଅଣ ଆମ୍ଭମାନଙ୍କ ହୃଦୟ ଉତ୍ତପ୍ତ ହେଉ ନ ଥିଲା? 33ଆଉ ସେମାନେ ସେହି ଦଣ୍ଡରେ ଉଠି ଯିରୂଶାଲମ ସହରକୁ ବାହୁଡ଼ିଯାଇ ସମବେତ ହୋଇଥିବା ଏକାଦଶ ଶିଷ୍ୟମାନଙ୍କୁ ଓ ସେମାନଙ୍କ ସଙ୍ଗୀମାନଙ୍କୁ ଦେଖିଲେ; 34ସେମାନେ କହୁଥିଲେ ପ୍ରଭୁ ନିଶ୍ଚୟ ଉଠିଅଛନ୍ତି ଓ ଶିମୋନଙ୍କୁ ଦର୍ଶନ ଦେଇଅଛନ୍ତି। 35ଆଉ ସେମାନେ ମଧ୍ୟ ବାଟର ସମସ୍ତ ଘଟଣା ଓ ରୁଟି ଭାଙ୍ଗିବାରେ ସେ କିପରି ସେମାନଙ୍କ ଦ୍ୱାରା ଚିହ୍ନାଗଲେ, ସେହିସବୁ ବର୍ଣ୍ଣନା କରିବାକୁ ଲାଗିଲେ।

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର