ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅପ୍ରେଲ 2027 › ଅପ୍ରେଲ 3
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 3 ଅପ୍ରେଲ 2027
ଶନିବାର · ପାସ୍କା ଅଷ୍ଟାହ
ପର୍ବ ଓ ସନ୍ଥ
ପାସ୍କା ଅଷ୍ଟାହର ଶନିବାର
ମହାପର୍ବ · ଉପାସନାର ରଙ୍ଗ: ଧଳା
ଦିନର ପାଠ
ପ୍ରଥମ ପାଠ
13ସେମାନେ ପିତର ଓ ଯୋହନଙ୍କ ସାହସ ଦେଖି ଏବଂ ସେମାନେ ଯେ ଅଶିକ୍ଷିତ ଓ ଅଜ୍ଞାନ ଲୋକ, ଏହା ବୁଝି ଆଶ୍ଚର୍ଯ୍ୟ ହେଲେ, ପୁଣି, ସେମାନେ ଯୀଶୁଙ୍କ ସାଙ୍ଗରେ ଥିଲେ ବୋଲି ସେମାନଙ୍କୁ ଚିହ୍ନିଲେ, 14ଆଉ ସେହି ସୁସ୍ଥ ହୋଇଥିବା ଲୋକଟି ସେମାନଙ୍କ ସାଙ୍ଗରେ ଠିଆ ହୋଇଥିବାର ଦେଖି, ସେମାନଙ୍କ ବିରୁଦ୍ଧରେ କିଛି କହି ପାରିଲେ ନାହିଁ। 15ପରେ ସେମାନଙ୍କୁ ସଭାରୁ ବାହାରିଯିବାକୁ ଆଜ୍ଞା ଦେଇ ସେମାନେ ପରସ୍ପର ମଧ୍ୟରେ ପରାମର୍ଶ କରି କହିବାକୁ ଲାଗିଲେ ଏହି ଲୋକମାନଙ୍କ ପ୍ରତି କଅଣ କରିବା? 16କାରଣ ଏମାନଙ୍କ ଦ୍ୱାରା ଯେ, ଗୋଟିଏ ମହା ଆଶ୍ଚର୍ଯ୍ୟକର୍ମ ସାଧିତ ହୋଇଅଛି ଏହା ଯିରୂଶାଲମ ସହରନିବାସୀ ସମସ୍ତଙ୍କ ନିକଟରେ ପ୍ରକାଶିତ ହୋଇଅଛି, ଆଉ ଆମ୍ଭେମାନେ ତାହା ଅସ୍ୱୀକାର କରି ନ ପାରୁ; 17କିନ୍ତୁ ଏ କଥାଟା ଯେପରି ଲୋକମାନଙ୍କ ମଧ୍ୟରେ ଆହୁରି ଅଧିକ ବ୍ୟାପି ନ ଯାଏ, ଏଥିପାଇଁ ଏହି ନାମରେ କୌଣସି ଲୋକକୁ ଆଉ କିଛି ନ କହିବାକୁ ସେମାନଙ୍କୁ ଭୟ ଦେଖାଇବା। 18ପରେ ସେମାନଙ୍କୁ ଡାକି ଯୀଶୁଙ୍କ ନାମରେ ଆଦୌ କଥା ନ କହିବାକୁ ବା ଶିକ୍ଷା ନ ଦେବାକୁ ଦୃଢ଼ରୂପେ ସେମାନଙ୍କୁ ଅାଜ୍ଞା ଦେଲେ। 19କିନ୍ତୁ ପିତର ଓ ଯୋହନ ସେମାନଙ୍କୁ ଉତ୍ତର ଦେଲେ, ଈଶ୍ବରଙ୍କ କଥା ଶୁଣିବା ଅପେକ୍ଷା ଆପଣମାନଙ୍କ କଥା ଶୁଣିବା ଈଶ୍ବରଙ୍କ ଦୃଷ୍ଟିରେ ଯଥାର୍ଥ କି ନା, ତାହା ଆପଣମାନେ ବିଚାର କରନ୍ତୁ 20କାରଣ ଆମ୍ଭେମାନେ ଯାହା ଯାହା ଦେଖିଅଛୁ ଓ ଶୁଣିଅଛୁ, ସେହିସବୁ ନ କହି ରହି ନ ପାରୁ। 21ସେଥିରେ ସେମାନେ ଲୋକମାନଙ୍କ ହେତୁ ସେମାନଙ୍କୁ ଦଣ୍ଡ ଦେବାର କୌଣସି ବାଟ ନ ପାଇବାରୁ ସେମାନଙ୍କୁ ଅଧିକ ଭୟ ଦେଖାଇ ଛାଡ଼ିଦେଲେ, ଯେଣୁ ଯାହା ଘଟିଥିଲା, ସେଥିନିମନ୍ତେ ଲୋକ ସମସ୍ତେ ଈଶ୍ବରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲେ,
ପ୍ରତିଉତ୍ତର ଗୀତ
1ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, କାରଣ ସେ ମଙ୍ଗଳମୟ; ହଁ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। 14ସଦାପ୍ରଭୁ ମୋହର ବଳ ଓ ଗାନ; ପୁଣି, ସେ ମୋହର ପରିତ୍ରାଣ ହୋଇଅଛନ୍ତି। 15ଧାର୍ମିକମାନଙ୍କ ତମ୍ବୁରେ ଆନନ୍ଦ ଓ ପରିତ୍ରାଣର ଧ୍ୱନି ଥାଏ; ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବୀରର କର୍ମ କରେ। 16ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ଉନ୍ନତ; ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବୀରର କର୍ମ କରେ। 18ସଦାପ୍ରଭୁ ମୋତେ ଭାରୀ ଶାସ୍ତି ଦେଇଅଛନ୍ତି; ମାତ୍ର ସେ ମୃତ୍ୟୁ ହସ୍ତରେ ମୋତେ ସମର୍ପି ଦେଇ ନାହାନ୍ତି। 19ମୋʼ ପାଇଁ ଦ୍ୱାରସବୁ ଫିଟାଅ ଯଦ୍ଦ୍ୱାରା ଧାର୍ମିକମାନେ ପ୍ରବେଶ କରନ୍ତି; ମୁଁ ତହିଁ ମଧ୍ୟରେ ପ୍ରବେଶ କରି ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି। 20ଏହି ସଦାପ୍ରଭୁଙ୍କ ଦ୍ୱାର; ଧାର୍ମିକ ଲୋକମାନେ ତହିଁରେ ପ୍ରବେଶ କରିବେ। 21ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି, କାରଣ ତୁମ୍ଭେ ମୋତେ ଉତ୍ତର ଦେଇଅଛ ଓ ମୋହର ପରିତ୍ରାଣ ହୋଇଅଛି।
ସୁସମାଚାର
9[ସପ୍ତାହର ପ୍ରଥମ ଦିବସ ପ୍ରତ୍ୟୁଷରେ ଯୀଶୁ ପୁନରୁତ୍ଥାନ କରି, ଯାହାଙ୍କଠାରୁ ସାତ ଭୂତ ଛଡ଼ାଇଥିଲେ, ସେହି ମଗ୍ଦଲୀନୀ ମରୀୟମଙ୍କୁ ପ୍ରଥମରେ ଦର୍ଶନ ଦେଲେ। 10ସେ ଯାଇ, ଯେଉଁମାନେ ତାହାଙ୍କ ସଙ୍ଗୀ ହୋଇଥିଲେ, ସେମାନଙ୍କୁ ସମ୍ବାଦ ଦେଲେ; ସେମାନେ ଶୋକ ଓ ରୋଦନ କରୁଥିଲେ। 11ଯୀଶୁ ଯେ ଜୀବିତ ଅଟନ୍ତି ଓ ତାହାଙ୍କୁ ଦର୍ଶନ ଦେଇଅଛନ୍ତି, ଏହା ଶୁଣି ସେମାନେ ବିଶ୍ୱାସ କଲେ ନାହିଁ। 12ଏହି ସମସ୍ତ ଘଟଣା ଉତ୍ତାରେ ସେମାନଙ୍କ ମଧ୍ୟରୁ ଦୁଇ ଜଣ ଗୋଟିଏ ପଲ୍ଲୀଗ୍ରାମକୁ ଯାଉଥିବା ସମୟରେ ସେ ଅନ୍ୟ ରୂପରେ ସେମାନଙ୍କୁ ଦର୍ଶନ ଦେଲେ, 13ପୁଣି, ସେମାନେ ଯାଇ ଅନ୍ୟମାନଙ୍କୁ ସମ୍ବାଦ ଦେଲେ; କିନ୍ତୁ ସେମାନଙ୍କ କଥା ସୁଦ୍ଧା ସେମାନେ ବିଶ୍ୱାସ କଲେ ନାହିଁ। 14ଏଥିଉତ୍ତାରେ ଏଗାର ଜଣ ଶିଷ୍ୟମାନେ ଭୋଜନରେ ବସିଥିବା ସମୟରେ ସେ ସେମାନଙ୍କୁ ଦର୍ଶନ ଦେଲେ ଏବଂ ସେମାନଙ୍କର ଅବିଶ୍ୱାସ ଓ ହୃଦୟର କଠିନତା ହେତୁ ସେମାନଙ୍କୁ ଅନୁଯୋଗ କଲେ, କାରଣ ଯେଉଁମାନେ ତାହାଙ୍କୁ ପୁନରୁତ୍ଥିତ ଦେଖିଲେ, ସେମାନଙ୍କ କଥା ସେମାନେ ବିଶ୍ୱାସ କରି ନ ଥିଲେ। 15ପୁଣି, ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସମୁଦାୟ ଜଗତକୁ ଯାଇ ସମସ୍ତ ମାନବଜାତି ନିକଟରେ ସୁସମାଚାର ଘୋଷଣା କର।
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର