ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅପ୍ରେଲ 2027 › ଅପ୍ରେଲ 6
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 6 ଅପ୍ରେଲ 2027
ମଙ୍ଗଳବାର · ପାସ୍କା କାଳର ଦ୍ୱିତୀୟ ସପ୍ତାହ
ପର୍ବ ଓ ସନ୍ଥ
ପାସ୍କା କାଳର ଦ୍ୱିତୀୟ ସପ୍ତାହର ମଙ୍ଗଳବାର
ସାଧାରଣ ଦିନ · ଉପାସନାର ରଙ୍ଗ: ଧଳା
ଦିନର ପାଠ
ପ୍ରଥମ ପାଠ
32ବିଶ୍ୱାସକାରୀ ଲୋକସମୂହ ଏକଚିତ୍ତ ଓ ଏକପ୍ରାଣ ଥିଲେ; ସେମାନଙ୍କ ମଧ୍ୟରୁ କେହିହେଲେ ଆପଣା ସମ୍ପତ୍ତି ମଧ୍ୟରୁ କିଛି ନିଜର ବୋଲି କହୁ ନ ଥିଲେ, କିନ୍ତୁ ସେମାନଙ୍କର ସମସ୍ତ ବିଷୟ ସାଧାରଣ ଥିଲା। 33ପ୍ରେରିତମାନେ ମହାଶକ୍ତି ସହିତ ପ୍ରଭୁ ଯୀଶୁଙ୍କ ପୁନରୁତ୍ଥାନ ବିଷୟରେ ସାକ୍ଷ୍ୟ ଦେବାକୁ ଲାଗିଲେ, ପୁଣି, ସମସ୍ତଙ୍କ ଉପରେ ମହା ଅନୁଗ୍ରହ ଥିଲା। 34ଯେଣୁ ସେମାନଙ୍କ ମଧ୍ୟରେ କାହାରି କୌଣସି ଅଭାବ ନ ଥିଲା, କାରଣ ଯେତେ ଲୋକଙ୍କର ଭୂମି ବା ଗୃହ ଥିଲା, ସେମାନେ ତାହା ବିକ୍ରୟ କରି ବିକ୍ରୀତ ସମ୍ପତ୍ତିର ମୂଲ୍ୟ ଆଣି ପ୍ରେରିତମାନଙ୍କର ପାଦ ତଳେ ରଖୁଥିଲେ, 35ଆଉ ପ୍ରତ୍ୟେକ ଜଣକୁ ତାହାର ଅଭାବ ଅନୁସାରେ ତାହା ବିତରଣ କରାଯାଉଥିଲା। 36ପୁଣି, ଯୋଷେଫ, ସାଇପ୍ରସ୍ ଦ୍ବୀପରୁ ଲେବୀ ବଂଶଜାତ ଜଣେ ଲୋକ, ଯାହାଙ୍କୁ ପ୍ରେରିତମାନେ ବର୍ଣ୍ଣବ୍ବା ବୋଲି ଉପନାମ ଦେଇଥିଲେ (ଅର୍ଥାତ୍ ସାନ୍ତ୍ୱନାର ପୁତ୍ର), 37ତାଙ୍କର ଖଣ୍ଡେ କ୍ଷେତ୍ର ଥିଲା; ସେ ତାହା ବିକ୍ରୟ କରି ସେଥିର ଟଙ୍କା ଆଣି ପ୍ରେରିତମାନଙ୍କର ପାଦ ତଳେ ଥୋଇଲେ।
ପ୍ରତିଉତ୍ତର ଗୀତ
1ସଦାପ୍ରଭୁ ରାଜ୍ୟ କରନ୍ତି; ସେ ମହିମାରେ ବସ୍ତ୍ରାନ୍ୱିତ; ସଦାପ୍ରଭୁ ବସ୍ତ୍ରାନ୍ୱିତ ହୋଇ ବଳରେ ଆପଣା କଟି ବାନ୍ଧି ଅଛନ୍ତି; ଜଗତ ମଧ୍ୟ ଏପରି ସ୍ଥାପିତ ଯେ, ତାହା ବିଚଳିତ ହୋଇ ନ ପାରେ। 2ତୁମ୍ଭ ସିଂହାସନ ପୂର୍ବଠାରୁ ସ୍ଥାପିତ; ତୁମ୍ଭେ ଅନାଦିକାଳରୁ ବିଦ୍ୟମାନ। 5ତୁମ୍ଭର ପ୍ରମାଣ-ବାକ୍ୟ ଅତି ନିଶ୍ଚିତ; ହେ ସଦାପ୍ରଭୋ, ପବିତ୍ରତା ସର୍ବଦା ତୁମ୍ଭ ଗୃହର ଶୋଭା।
ସୁସମାଚାର
7‘ତୁମ୍ଭମାନଙ୍କୁ ଅବଶ୍ୟ ପୁନର୍ବାର ଜନ୍ମିବାକୁ ହେବ’ ବୋଲି ମୁଁ ଯେ ତୁମ୍ଭକୁ କହିଲି, ଏଥିରେ ଚମତ୍କୃତ ହୁଅ ନାହିଁ। 8ବାୟୁ ଯେଉଁ ଦିଗରେ ଇଚ୍ଛା କରେ, ସେହି ଦିଗରେ ବହେ, ଆଉ ତୁମ୍ଭେ ତାହାର ଶବ୍ଦ ଶୁଣିଥାଅ, କିନ୍ତୁ ତାହା କେଉଁଠାରୁ ଆସେ ପୁଣି, କେଉଁଠାକୁ ଯାଏ, ତାହା ଜାଣ ନାହିଁ; ପବିତ୍ର ଆତ୍ମାଙ୍କଠାରୁ ଜାତ ପ୍ରତ୍ୟେକ ଲୋକ ସମ୍ବନ୍ଧରେ ସେହି ପ୍ରକାର।” 9ନୀକଦୀମ ତାହାଙ୍କୁ ଉତ୍ତର ଦେଲେ, ଏହିସବୁ କିପରି ହୋଇପାରେ? 10ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ତୁମ୍ଭେ ଇସ୍ରାଏଲର ଜଣେ ଗୁରୁ ହୋଇ ସୁଦ୍ଧା କଅଣ ଏହିସବୁ ବୁଝୁ ନାହଁ? 11ମୁଁ ତୁମ୍ଭକୁ ସତ୍ୟ ସତ୍ୟ କହୁଅଛି, ଆମ୍ଭେମାନେ ଯାହା ଜାଣୁ, ତାହା କହୁ, ପୁଣି, ଯାହା ଦେଖିଅଛୁ, ତାହା ବିଷୟରେ ସାକ୍ଷ୍ୟ ଦେଉ, ଆଉ ତୁମ୍ଭେମାନେ ଆମ୍ଭମାନଙ୍କର ସାକ୍ଷ୍ୟ ଗ୍ରହଣ କରୁ ନାହଁ। 12ମୁଁ ତୁମ୍ଭମାନଙ୍କୁ ପାର୍ଥିବ ବିଷୟ କହିଲେ ଯଦି ତୁମ୍ଭେମାନେ ବିଶ୍ୱାସ ନ କର, ତେବେ ତୁମ୍ଭମାନଙ୍କୁ ସ୍ୱର୍ଗୀୟ ବିଷୟ କହିଲେ କିପରି ବିଶ୍ୱାସ କରିବ? 13ଆଉ, ଯେଉଁ ମନୁଷ୍ୟପୁତ୍ର ସ୍ୱର୍ଗରୁ ଅବତରଣ କଲେ, ତାହାଙ୍କ ବିନା ଆଉ କେହି ସ୍ୱର୍ଗାରୋହଣ କରି ନାହିଁ। 14ପୁଣି, ମୋଶା ଯେପ୍ରକାର ପ୍ରାନ୍ତରରେ ପିତ୍ତଳର ଏକ ସର୍ପକୁ ଊର୍ଦ୍ଧ୍ୱକୁ ଉଠାଇଥିଲେ, ମନୁଷ୍ୟପୁତ୍ର ଅବଶ୍ୟ ସେହି ପ୍ରକାର ଊର୍ଦ୍ଧ୍ୱକୁ ଉଠାଯିବେ, 15ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୁଏ।”
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର