Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅପ୍ରେଲ 2027 › ଅପ୍ରେଲ 14

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 14 ଅପ୍ରେଲ 2027

ବୁଧବାର · ପାସ୍କା କାଳର ତୃତୀୟ ସପ୍ତାହ

ପର୍ବ ଓ ସନ୍ଥ

ପାସ୍କା କାଳର ତୃତୀୟ ସପ୍ତାହର ବୁଧବାର

ସାଧାରଣ ଦିନ · ଉପାସନାର ରଙ୍ଗ: ଧଳା

ଦିନର ପାଠ

ପ୍ରଥମ ପାଠ

ପ୍ରେରି 8:1–8

1ଶାଉଲ, ସ୍ତିଫାନଙ୍କ ହତ୍ୟାରେ ଏକମତ ଥିଲେ। ସେହି ଦିନ ଯିରୂଶାଲମ ସହରରେ ଥିବା ମଣ୍ଡଳୀ ପ୍ରତି ଅତିଶୟ ତାଡ଼ନା ଘଟିଲା; ସେଥିରେ ପ୍ରେରିତମାନଙ୍କ ଛଡ଼ା ଅନ୍ୟସମସ୍ତେ ଯିହୂଦିୟା ପ୍ରଦେଶ ଓ ଶମିରୋଣ ଅଞ୍ଚଳ ସମୂହର ଚାରିଆଡ଼େ ଛିନ୍ନଭିନ୍ନ ହୋଇଗଲେ। 2ତଥାପି କେତେକ ଭକ୍ତ ଲୋକମାନେ ସ୍ତିଫାନଙ୍କୁ ସମାଧି ଦେଇ ତାହାଙ୍କ ନିମନ୍ତେ ବହୁତ ବିଳାପ କଲେ। 3କିନ୍ତୁ ଶାଉଲ ଘରେ ଘରେ ପଶି ବିଶ୍ୱାସୀ ପୁରୁଷ ଓ ସ୍ତ୍ରୀଲୋକମାନଙ୍କୁ ଟାଣିଆଣି କାରାଗାରରେ ନିକ୍ଷେପ କରି ମଣ୍ଡଳୀକୁ ଧ୍ୱଂସ କରିବାକୁ ଲାଗିଲେ। 4ସେଥିରେ ଯେଉଁମାନେ ଛିନ୍ନଭିନ୍ନ ହୋଇଥିଲେ, ସେମାନେ ଚତୁର୍ଦ୍ଦିଗରେ ଭ୍ରମଣ କରୁ କରୁ ସୁସମାଚାରର ବାକ୍ୟ ପ୍ରଚାର କଲେ। 5ପୁଣି, ଫିଲିପ୍ପ ଶମିରୋଣର ପ୍ରଧାନ ନଗରକୁ ଯାଇ ଲୋକମାନଙ୍କ ନିକଟରେ ଖ୍ରୀଷ୍ଟଙ୍କୁ ଘୋଷଣା କରିବାକୁ ଲାଗିଲେ। 6ଆଉ ଲୋକସମୂହ ଫିଲିପ୍ପଙ୍କ କଥା ଶୁଣି ଓ ସେ କରିଥିବା ଆଶ୍ଚର୍ଯ୍ୟକର୍ମଗୁଡ଼ିକ ଦେଖି ଏକଚିତ୍ତରେ ତାହାଙ୍କ କଥାରେ ମନୋଯୋଗ କରୁଥିଲେ। 7କାରଣ ଅଶୁଚି ଆତ୍ମାବିଷ୍ଟ ଅନେକ ଲୋକଙ୍କଠାରୁ ସେହି ଆତ୍ମାଗୁଡ଼ାକ ଉଚ୍ଚସ୍ୱରରେ ଚିତ୍କାର କରି ବାହାରିଆସିବାକୁ ଲାଗିଲେ, ପୁଣି, ଅନେକ ପକ୍ଷାଘାତରୋଗୀ ଓ ଖଞ୍ଜ ସୁସ୍ଥ ହେଲେ। 8ସେଥିରେ ସେ ନଗରରେ ମହା ଆନନ୍ଦ ହେଲା।

ପ୍ରତିଉତ୍ତର ଗୀତ

ଗୀତ 66:1–7

1ପ୍ରଧାନ ବାଦ୍ୟକର ନିମନ୍ତେ ଗାନାର୍ଥକ ଗୀତ। ହେ ସମୁଦାୟ ପୃଥିବୀ, ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର। 2ତାହାଙ୍କ ନାମର ମହିମା କୀର୍ତ୍ତନ କର; ତାହାଙ୍କ ପ୍ରଶଂସାକୁ ଗୌରବାନ୍ୱିତ କର। 3ପରମେଶ୍ୱରଙ୍କୁ କୁହ, “ତୁମ୍ଭ କର୍ମସକଳ କିପରି ଭୟଙ୍କର! ତୁମ୍ଭ ପରାକ୍ରମର ମହତ୍ତ୍ୱ ଦ୍ୱାରା ତୁମ୍ଭ ଶତ୍ରୁଗଣ ଆପେ ତୁମ୍ଭର ବଶୀଭୂତ ହେବେ। 4ସମୁଦାୟ ପୃଥିବୀ ତୁମ୍ଭଙ୍କୁ ପ୍ରଣାମ କରିବେ ଓ ତୁମ୍ଭ ଉଦ୍ଦେଶ୍ୟରେ ଗାନ କରିବେ; ସେମାନେ ତୁମ୍ଭ ନାମ କୀର୍ତ୍ତନ କରିବେ।” 5ଆସ ଓ ପରମେଶ୍ୱରଙ୍କ କ୍ରିୟାସକଳ ଦେଖ; ମନୁଷ୍ୟ-ସନ୍ତାନଗଣ ପ୍ରତି ଆପଣା କ୍ରିୟାରେ ସେ ଭୟଙ୍କର ଅଟନ୍ତି। 6ସେ ସମୁଦ୍ରକୁ ଶୁଷ୍କ ଭୂମି କଲେ; ଲୋକମାନେ ନଦୀ ମଧ୍ୟଦେଇ ପାଦରେ ଗମନ କଲେ; ସେହି ସ୍ଥାନରେ ଆମ୍ଭେମାନେ ତାହାଙ୍କଠାରେ ଆନନ୍ଦ କଲୁ। 7ସେ ଆପଣା ପରାକ୍ରମରେ ଅନନ୍ତକାଳ କର୍ତ୍ତୃତ୍ୱ କରନ୍ତି; ତାହାଙ୍କ ଚକ୍ଷୁ ଗୋଷ୍ଠୀସମୂହକୁ ନିରୀକ୍ଷଣ କରେ; ବିଦ୍ରୋହୀମାନେ ଆପଣାମାନଙ୍କୁ ଉନ୍ନତ ନ କରନ୍ତୁ। [ସେଲା]

ସୁସମାଚାର

ଯୋହ 6:35–40

35ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ମୁଁ ସେହି ଜୀବନଦାୟକ ଆହାର; ଯେ ମୋʼ ନିକଟକୁ ଆସେ, ସେ କଦାପି କ୍ଷୁଧିତ ହେବ ନାହିଁ, ଆଉ ଯେ ମୋʼଠାରେ ବିଶ୍ୱାସ କରେ, ସେ କଦାପି ତୃଷିତ ହେବ ନାହିଁ। 36କିନ୍ତୁ ତୁମ୍ଭେମାନେ ମୋତେ ଦେଖିଲେ ହେଁ ଯେ ବିଶ୍ୱାସ କରୁ ନାହଁ, ଏହା ମୁଁ ତୁମ୍ଭମାନଙ୍କୁ କହିଅଛି। 37ପିତା ଯେଉଁ ସମସ୍ତଙ୍କୁ ମୋତେ ଦାନ କରନ୍ତି, ସେମାନେ ମୋʼ ନିକଟକୁ ଆସିବେ; ଆଉ, ଯେ ମୋʼ ନିକଟକୁ ଆସେ, ତାହାକୁ ମୁଁ କୌଣସି ପ୍ରକାରେ ବାହାର କରିଦେବି ନାହିଁ; 38କାରଣ ମୁଁ ନିଜ ଇଚ୍ଛା ସାଧନ କରିବାକୁ ଅବତରଣ ନ କରି ବରଂ ମୋହର ପ୍ରେରଣକର୍ତ୍ତାଙ୍କ ଇଚ୍ଛା ସାଧନ କରିବାକୁ ସ୍ୱର୍ଗରୁ ଅବତରଣ କରିଅଛି। 39ଆଉ, ମୋହର ପ୍ରେରଣକର୍ତ୍ତା ଯେଉଁ ସମସ୍ତଙ୍କୁ ମୋତେ ଦାନ କରିଅଛନ୍ତି, ସେମାନଙ୍କ ମଧ୍ୟରୁ କାହାକୁ ହିଁ ଯେପରି ମୁଁ ନ ହରାଇ ବରଂ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି, ଏହା ତାହାଙ୍କର ଇଚ୍ଛା। 40କାରଣ ଯେ କେହି ପୁତ୍ରଙ୍କୁ ଦର୍ଶନ କରି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେପରି ଅନନ୍ତ ଜୀବନ ପ୍ରାପ୍ତ ହୁଏ, ଏହା ହିଁ ମୋହର ପିତାଙ୍କର ଇଚ୍ଛା; ଆଉ, ମୁଁ ତାହାକୁ ଶେଷ ଦିନରେ ଉତ୍ଥାପନ କରିବି।

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର