ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅପ୍ରେଲ 2027 › ଅପ୍ରେଲ 15
ଅର୍ଥୋଡକ୍ସ ପଞ୍ଜିକା · 2 ଅପ୍ରେଲ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 15 ଅପ୍ରେଲ 2027
ଗୁରୁବାର · ମହା ଉପବାସର ପଞ୍ଚମ ସପ୍ତାହ · ସ୍ୱର 4
ପର୍ବ ଓ ସନ୍ଥ
କ୍ରୀତୀର ସନ୍ଥ ଆନ୍ଦ୍ରିୟଙ୍କ ମହା କାନନ୍
ମହା ଉପବାସ
ଉପବାସ: ତେଲ ସହିତ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ଷଷ୍ଠ ଘଣ୍ଟା
5ଯେ ଆକାଶମଣ୍ଡଳ ସୃଷ୍ଟି କରି ବିସ୍ତାର କଲେ; ଯେ ଭୂତଳ ଓ ତଦୁତ୍ପନ୍ନସକଳ ବିଛାଇଲେ; ଯେ ତହିଁ ଉପରିସ୍ଥ ସକଳ ଲୋକଙ୍କୁ ନିଶ୍ୱାସପ୍ରଶ୍ୱାସ ଦିଅନ୍ତି ଓ ତନ୍ମଧ୍ୟରେ ଗମନାଗମନକାରୀମାନଙ୍କୁ ପ୍ରାଣ ଦିଅନ୍ତି, ସେହି ସଦାପ୍ରଭୁ ପରମେଶ୍ୱର ଏହି କଥା କହନ୍ତି; 6“ଆମ୍ଭେ ସଦାପ୍ରଭୁ, ଧର୍ମରେ ତୁମ୍ଭକୁ ଆହ୍ୱାନ କରିଅଛୁ ଓ ତୁମ୍ଭର ହସ୍ତ ଧରି ତୁମ୍ଭକୁ ରକ୍ଷା କରିବୁ, ଆଉ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରିବା ପାଇଁ, ବନ୍ଦୀମାନଙ୍କୁ କାରାକୂପରୁ ଓ ଅନ୍ଧକାରରେ ବସିଥିବା ଲୋକମାନଙ୍କୁ ବନ୍ଦୀଗୃହରୁ ବାହାର କରି ଆଣିବା ପାଇଁ, 7ଆମ୍ଭେ ତୁମ୍ଭକୁ ଲୋକମାନଙ୍କର ନିୟମ ସ୍ୱରୂପ ଓ ଅନ୍ୟଦେଶୀୟମାନଙ୍କର ଦୀପ୍ତି ସ୍ୱରୂପ କରି ନିଯୁକ୍ତ କରିବୁ। 8ଆମ୍ଭେ ସଦାପ୍ରଭୁ: ଏହି ଆମ୍ଭର ନାମ; ପୁଣି, ଆମ୍ଭେ ଆପଣା ଗୌରବ ଅନ୍ୟକୁ, କିଅବା ଆପଣା ପ୍ରଶଂସା ଖୋଦିତ ପ୍ରତିମାଗଣକୁ ଦେବୁ ନାହିଁ। 9ଦେଖ, ଆଦ୍ୟ ବିଷୟମାନ ସିଦ୍ଧ ହେଲା, ଆଉ ଆମ୍ଭେ ନୂତନ ବିଷୟମାନ ପ୍ରକାଶ କରୁ; ସେହି ସବୁ ଅଙ୍କୁରିତ ହେବାର ପୂର୍ବେ ତଦ୍ବିଷୟ ଆମ୍ଭେ ତୁମ୍ଭମାନଙ୍କୁ ଜଣାଉ।” 10ହେ ସମୁଦ୍ରଗାମୀମାନେ ଓ ସମୁଦ୍ର ମଧ୍ୟସ୍ଥିତ ସମସ୍ତେ, ହେ ଦ୍ୱୀପଗଣ ଓ ତନ୍ନିବାସୀମାନେ, ତୁମ୍ଭେ ସମସ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଓ ପୃଥିବୀର ପ୍ରାନ୍ତରୁ ତାହାଙ୍କର ପ୍ରଶଂସା ଗାନ କର। 11ପ୍ରାନ୍ତର ଓ ତହିଁର ନଗରସକଳ, କେଦାରର ବସତି ଗ୍ରାମସକଳ ଉଚ୍ଚ ରବ କରନ୍ତୁ; ଶୈଳନିବାସୀମାନେ ଗାନ କରନ୍ତୁ, ପର୍ବତଗଣର ଶିଖରରୁ ସେମାନେ ମହାନାଦ କରନ୍ତୁ। 12ସେମାନେ ସଦାପ୍ରଭୁଙ୍କୁ ଗୌରବ ଦେଉନ୍ତୁ ଓ ଦ୍ୱୀପସମୂହ ମଧ୍ୟରେ ତାହାଙ୍କର ପ୍ରଶଂସା ପ୍ରଚାର କରନ୍ତୁ। 13ସଦାପ୍ରଭୁ ବୀର ତୁଲ୍ୟ ବିଜେ କରିବେ; ସେ ଯୋଦ୍ଧାର ନ୍ୟାୟ ଆପଣା ଉଦ୍ଯୋଗ ଉତ୍ତେଜିତ କରିବେ; ସେ ଉଚ୍ଚସ୍ୱର କରିବେ, ହଁ, ସେ ମହାନାଦ କରିବେ; ସେ ଆପଣା ଶତ୍ରୁଗଣର ପ୍ରତିକୂଳରେ ପ୍ରବଳ ରୂପରେ କାର୍ଯ୍ୟ କରିବେ। 14ଆମ୍ଭେ ଦୀର୍ଘ କାଳ ନୀରବ ହୋଇଅଛୁ; ଆମ୍ଭେ ସ୍ଥିର ହୋଇ ଆପଣାକୁ କ୍ଷାନ୍ତ କରିଅଛୁ; ଏବେ ଆମ୍ଭେ ପ୍ରସବକାରିଣୀ ସ୍ତ୍ରୀ ପରି ଡାକ ଛାଡ଼ିବା; ଆମ୍ଭେ ଏକାବେଳେ ଦୀର୍ଘ ନିଶ୍ୱାସ ଟାଣି ବ୍ୟଗ୍ରଚିତ୍ତ ହେବା। 15ଆମ୍ଭେ ପର୍ବତ ଓ ଉପପର୍ବତଗଣକୁ ଧ୍ୱଂସିତ କରିବା ଓ ତହିଁର ତୃଣସବୁ ଶୁଷ୍କ କରିବା; ଆଉ, ଆମ୍ଭେ ନଦ-ନଦୀକୁ ଦ୍ୱୀପ ଓ ଜଳାଶୟକୁ ଶୁଷ୍କ କରିବା। 16ପୁଣି, ଆମ୍ଭେ ଅନ୍ଧମାନଙ୍କୁ ସେମାନଙ୍କର ଅଜ୍ଞାତ ପଥ ଦେଇ ଆଣିବା; ଯେଉଁ ମାର୍ଗ ସେମାନେ ଜାଣନ୍ତି ନାହିଁ, ସେହି ସବୁ ମାର୍ଗରେ ସେମାନଙ୍କୁ କଢ଼ାଇବା; ଆମ୍ଭେ ସେମାନଙ୍କ ସମ୍ମୁଖରେ ଅନ୍ଧକାରକୁ ଆଲୁଅ ଓ ବକ୍ରସ୍ଥାନସବୁକୁ ସଳଖ କରିବା। ଏହିସବୁ କାର୍ଯ୍ୟ ଆମ୍ଭେ କରି ସେମାନଙ୍କୁ ପରିତ୍ୟାଗ କରିବା ନାହିଁ।
ସନ୍ଧ୍ୟା ପ୍ରାର୍ଥନା: ପାଠ
20ସଦାପ୍ରଭୁ ଆହୁରି କହିଲେ, “ସଦୋମ ଓ ହମୋରାର ବିରୁଦ୍ଧରେ ମହାଧ୍ୱନି ଉଠୁଅଛି, ସେମାନଙ୍କର ପାପ ଅତିଶୟ ଗୁରୁତର; 21ଏଣୁ ଆମ୍ଭେ ତଳକୁ ଦେଖିବାକୁ ଯାଇ ଆମ୍ଭ ନିକଟକୁ ଆଗତ କ୍ରନ୍ଦନ ଅନୁସାରେ ସେମାନେ ସର୍ବତୋଭାବେ କରିଅଛନ୍ତି କି ନାହିଁ, ତାହା ଜାଣିବା।” 22ଏଥିଉତ୍ତାରେ ସେହି ବ୍ୟକ୍ତିମାନେ ସେହିଠାରୁ ବାହୁଡ଼ି ସଦୋମ ଆଡ଼କୁ ଗମନ କଲେ; ମାତ୍ର ଅବ୍ରହାମ ସେ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଛାମୁରେ ଛିଡ଼ା ହୋଇ ରହିଲେ। 23ଏଥିଉତ୍ତାରେ ଅବ୍ରହାମ ନିକଟକୁ ଯାଇ କହିଲେ, “ଆପଣ କି ଦୁଷ୍ଟ ସହିତ ଧାର୍ମିକକୁ ସଂହାର କରିବେ? 24ହୋଇପାରେ, ନଗର ମଧ୍ୟରେ ପଚାଶ ଜଣ ଧାର୍ମିକ ଥିବେ; ତହିଁ ମଧ୍ୟବର୍ତ୍ତୀ ପଚାଶ ଜଣ ଧାର୍ମିକଙ୍କ ସକାଶେ କି ସେହି ସ୍ଥାନ ରକ୍ଷା ନ କରି ସଂହାର କରିବେ? 25ଦୁଷ୍ଟ ସହିତ ଧାର୍ମିକକୁ ବିନାଶ କରିବାର କର୍ମ ଆପଣଙ୍କଠାରୁ ଦୂରେ ଥାଉ ଓ ଧାର୍ମିକକୁ ଦୁଷ୍ଟର ସମାନ କରିବା ଆପଣଙ୍କଠାରୁ ଦୂରେ ଥାଉ। ସମସ୍ତ ପୃଥିବୀର ବିଚାରକର୍ତ୍ତା କି ନ୍ୟାୟବିଚାର କରିବେ ନାହିଁ?” 26ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ଯଦି ସଦୋମ ନଗରରେ ପଚାଶ ଜଣ ଧାର୍ମିକ ଦେଖିବା, ତେବେ ସେମାନଙ୍କ ସକାଶେ ସମସ୍ତ ସ୍ଥାନ ରକ୍ଷା କରିବା।” 27ତହିଁରେ ଅବ୍ରହାମ ପ୍ରତ୍ୟୁତ୍ତର କଲେ, “ଦେଖନ୍ତୁ, ମୁଁ ଧୂଳି ଓ ଭସ୍ମମାତ୍ର ହେଲେ ହେଁ ମୋ ପ୍ରଭୁଙ୍କ ଛାମୁରେ କଥା କହିବାକୁ ପ୍ରବୃତ୍ତ ହୋଇଅଛି। 28ହୋଇପାରେ, ପଚାଶ ଜଣ ଧାର୍ମିକ ମଧ୍ୟରୁ ପାଞ୍ଚ ଜଣ ଊଣା ଥିବେ; ସେହି ପାଞ୍ଚ ଜଣ ଊଣା ହେବା ସକାଶୁ କି ଆପଣ ସମସ୍ତ ନଗର ବିନଷ୍ଟ କରିବେ?” ସଦାପ୍ରଭୁ କହିଲେ, “ଆମ୍ଭେ ପଞ୍ଚଚାଳିଶ ଜଣ ପାଇଲେ, ତାହା ବିନଷ୍ଟ କରିବା ନାହିଁ।” 29ଅବ୍ରହାମ ତାହାଙ୍କୁ ପୁନର୍ବାର କହିଲେ, “ହୋଇପାରେ, ସେଠାରେ ଚାଳିଶ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ସେହି ଚାଳିଶ ଜଣ ସକାଶୁ ତାହା କରିବା ନାହିଁ।” 30ପୁନର୍ବାର ଅବ୍ରହାମ କହିଲେ, “ପ୍ରଭୁ ବିରକ୍ତ ନୋହିଲେ ଆହୁରି କଥାଟିଏ କହିବି; ହୋଇପାରେ, ସେଠାରେ ତିରିଶ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ତିରିଶ ଜଣ ପାଇଲେ, ତାହା କରିବା ନାହିଁ।” 31ଅବ୍ରହାମ କହିଲେ, “ଦେଖନ୍ତୁ, ପ୍ରଭୁଙ୍କ ଛାମୁରେ ମୁଁ ପୁନର୍ବାର କଥା କହିବାକୁ ପ୍ରବୃତ୍ତ ହୋଇଅଛି; ହୋଇପାରେ, ସେଠାରେ କୋଡ଼ିଏ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ସେହି କୋଡ଼ିଏ ଜଣ ସକାଶୁ ଆମ୍ଭେ ତାହା ବିନଷ୍ଟ କରିବା ନାହିଁ।” 32ଅବ୍ରହାମ କହିଲେ, “ପ୍ରଭୁ ବିରକ୍ତ ନୋହିଲେ ଆଉ ଥରେ ମାତ୍ର କହିବି; ହୋଇପାରେ, ସେଠାରେ ଦଶ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ସେହି ଦଶ ଜଣ ସକାଶୁ ଆମ୍ଭେ ତାହା ବିନଷ୍ଟ କରିବା ନାହିଁ।” 33ସେତେବେଳେ ସଦାପ୍ରଭୁ ଅବ୍ରହାମଙ୍କ ସହିତ ଏପ୍ରକାର କଥୋପକଥନ ସମାପନ କରି ପ୍ରସ୍ଥାନ କଲେ, ପୁଣି, ଅବ୍ରହାମ ମଧ୍ୟ ସ୍ୱ ସ୍ଥାନକୁ ଫେରିଗଲେ।
ସନ୍ଧ୍ୟା ପ୍ରାର୍ଥନା: ପାଠ
17ମନ୍ଦତା ତ୍ୟାଗ କରିବାର ସରଳ ଲୋକମାନଙ୍କର ରାଜଦାଣ୍ଡ, ଯେଉଁ ଲୋକ ଆପଣା ପଥ ଜଗି ଚାଲେ, ସେ ଆପଣା ପ୍ରାଣ ରକ୍ଷା କରେ। 18ଅହଙ୍କାର ସର୍ବନାଶର ସମ୍ମୁଖରେ ଥାଏ, ପୁଣି, ଦାମ୍ଭିକ ମନ ପତନର ସମ୍ମୁଖରେ ଥାଏ। 19ଅହଙ୍କାରୀମାନଙ୍କ ସହିତ ଲୁଟିତ ଦ୍ରବ୍ୟ ଭାଗ କରିବା ଅପେକ୍ଷା ଦୀନାତ୍ମା ସହିତ ନମ୍ର ହେବାର ଭଲ। 20ଯେଉଁ ଲୋକ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କରେ, ସେ ମଙ୍ଗଳ ପାଏ, ପୁଣି ସଦାପ୍ରଭୁଙ୍କଠାରେ ଯେ ନିର୍ଭର କରେ, ସେ ଧନ୍ୟ। 21ମନରେ ଜ୍ଞାନୀ ଲୋକ ବୁଦ୍ଧିମାନ ବିଖ୍ୟାତ ହୁଏ, ପୁଣି, ଓଷ୍ଠାଧରର ମିଷ୍ଟତା ପାଣ୍ଡିତ୍ୟ ବଢ଼ାଏ। 22ସଦ୍ବୁଦ୍ଧି, ତାହା ପାଇଥିବା ଲୋକ ପ୍ରତି ଜୀବନର ଝର ସ୍ୱରୂପ ଅଟେ; ମାତ୍ର ଅଜ୍ଞାନତା ଅଜ୍ଞାନମାନଙ୍କର ଶାସ୍ତି। 23ଜ୍ଞାନବାନର ହୃଦୟ ଆପଣା ମୁଖକୁ ଶିକ୍ଷା ଦିଏ, ପୁଣି, ତାହାର ବାକ୍ୟ ପାଣ୍ଡିତ୍ୟ ବଢ଼ାଏ। 24ମନୋହର ଭାଷା ମଧୁଚାକ ସଦୃଶ, ତାହା ମନକୁ ସୁମିଷ୍ଟ, ଅସ୍ଥିକୁ ସ୍ୱାସ୍ଥ୍ୟ। 25ମନୁଷ୍ୟର ଦୃଷ୍ଟିରେ କୌଣସି କୌଣସି ପଥ ସରଳ ଦିଶେ, ମାତ୍ର ତହିଁର ଶେଷରେ ମୃତ୍ୟୁର ପଥ ଥାଏ। 26ପରିଶ୍ରମକାରୀର କ୍ଷୁଧା ତାହା ନିମନ୍ତେ ପରିଶ୍ରମ କରେ, ଯେହେତୁ ତାହାର ମୁଖ ତହିଁ ପାଇଁ ତାହାକୁ ବାଧ୍ୟ କରେ। 27ଦୁଷ୍ଟ ଲୋକ ଅନିଷ୍ଟ କଳ୍ପନା କରେ, ପୁଣି, ତାହାର ଓଷ୍ଠରେ ଜ୍ୱଳନ୍ତା ଅଗ୍ନି ପରି ଥାଏ। 28କୁଟିଳ ମନୁଷ୍ୟ କଳି ବୁଣେ, ପୁଣି କର୍ଣ୍ଣେଜପ ବିଶେଷ ମିତ୍ରଗଣକୁ ବିଭିନ୍ନ କରେ। 29ଅତ୍ୟାଚାରୀ ଆପଣା ପ୍ରତିବାସୀକୁ ଭୁଲାଏ, ପୁଣି, ତାହାକୁ କୁପଥରେ କଢ଼ାଇ ନିଏ। 30ଯେଉଁ ଲୋକ ଆପଣା ଚକ୍ଷୁ ମୁଦେ, ସେ କୁଟିଳ ବିଷୟ କଳ୍ପନା କରିବାକୁ ତାହା କରେ; ଯେ ଆପଣା ଓଷ୍ଠାଧରକୁ ଚିପେ, ସେ ମନ୍ଦ କର୍ମ ସିଦ୍ଧ କରେ। 31ପକ୍ୱକେଶ ଶୋଭାଜନକ ମୁକୁଟ, ତାହା ଧର୍ମ ପଥରେ ପ୍ରାପ୍ତ ହୁଏ। 32ଯେ କ୍ରୋଧରେ ଧୀର, ସେ ବୀର ଅପେକ୍ଷା ଶ୍ରେଷ୍ଠ; ପୁଣି, ଯେ ନିଜ ଆତ୍ମା ଉପରେ କର୍ତ୍ତୃତ୍ୱ କରେ, ସେ ନଗର ଜୟକାରୀ ଅପେକ୍ଷା ଭଲ। 33ଗୁଲିବାଣ୍ଟ କୋଳରେ ପକାଯାଏ, ମାତ୍ର ତହିଁର ନିଷ୍ପତ୍ତି ସଦାପ୍ରଭୁଙ୍କଠାରୁ ହୁଏ। 17:1ବିବାଦଯୁକ୍ତ ଭୋଜରେ ପୂର୍ଣ୍ଣ ଗୃହ ଅପେକ୍ଷା ଶାନ୍ତି ସହିତ ଶୁଖିଲା ରୁଟି ଖଣ୍ଡେ ଭଲ। 2ଯେଉଁ ଦାସ ବୁଦ୍ଧିପୂର୍ବକ ଚଳେ, ସେ ଲଜ୍ଜାଦାୟୀ ପୁତ୍ର ଉପରେ କର୍ତ୍ତୃତ୍ୱ କରେ, ପୁଣି, ଭାଇମାନଙ୍କ ସଙ୍ଗରେ ଅଧିକାରର ବାଣ୍ଟ ପାଏ। 3କୋୟିରେ ରୂପାର ଓ ଉହ୍ମାଇରେ ସୁନାର ପରୀକ୍ଷା ହୁଏ; ମାତ୍ର ସଦାପ୍ରଭୁ ଅନ୍ତଃକରଣର ପରୀକ୍ଷା କରନ୍ତି। 4କୁକ୍ରିୟାକାରୀ ଲୋକ ଦୁଷ୍ଟ ଓଷ୍ଠାଧରର କଥା ଶୁଣେ, ପୁଣି, ମିଥ୍ୟାବାଦୀ ହିଂସ୍ର ଜିହ୍ୱାରେ କର୍ଣ୍ଣପାତ କରେ। 5ଯେଉଁ ଲୋକ ଦରିଦ୍ରକୁ ପରିହାସ କରେ, ସେ ତାହାର ସୃଷ୍ଟିକର୍ତ୍ତାଙ୍କୁ ନିନ୍ଦା କରେ; ପୁଣି, ବିପଦରେ ଯେ ଆନନ୍ଦ କରେ, ସେ ଅଦଣ୍ଡିତ ରହିବ ନାହିଁ। 6ସନ୍ତାନଗଣର ସନ୍ତାନମାନେ ବୃଦ୍ଧ ଲୋକମାନଙ୍କର ମୁକୁଟ; ପୁଣି, ସନ୍ତାନମାନଙ୍କର ଗୌରବ ସେମାନଙ୍କ ପିତୃଗଣ। 7ବାକ୍ପଟୁ ଓଷ୍ଠ ମୂଢ଼ର ଅନୁପଯୁକ୍ତ, ମିଥ୍ୟାବାଦୀ ଓଷ୍ଠାଧର କୁଳୀନର ଅଧିକ ଅନୁପଯୁକ୍ତ। 8ଗ୍ରାହକର ଦୃଷ୍ଟିରେ ଦାନ ବହୁମୂଲ୍ୟ ମଣି ତୁଲ୍ୟ, ତାହା ଯେଉଁ ଦିଗରେ ଫେରେ, ସେହି ଦିଗରେ ସଫଳ ହୁଏ। 9ଯେ ଅଧର୍ମ କ୍ଷମା କରେ, ସେ ପ୍ରେମ ଖୋଜେ; ମାତ୍ର ଯେ ପୁନଃ ପୁନଃ ଗୋଟିଏ କଥା ଉତ୍ଥାପନ କରେ, ସେ ବିଶେଷ ମିତ୍ରଗଣକୁ ଅଲଗା କରେ। 10ମୂର୍ଖକୁ ଶହେ ମାଡ଼ ଅପେକ୍ଷା ବୁଦ୍ଧିମାନକୁ ପଦେ ଅନୁଯୋଗ ଅଧିକ କାଟେ। 11ଦୁର୍ଜ୍ଜନ କେବଳ ବିଦ୍ରୋହ ଖୋଜେ, ଏଣୁ ତାହା ବିରୁଦ୍ଧରେ ନିଷ୍ଠୁର ଦୂତ ପଠାଯିବ। 12ଛୁଆହରା ଭଲ୍ଲୁକୀ ପଛେ ମନୁଷ୍ୟକୁ ଭେଟୁ, ନିଜ ଅଜ୍ଞାନତାରେ ମଗ୍ନ ମୂର୍ଖ ନ ଭେଟୁ। 13ଯେଉଁ ଲୋକ ଭଲ ବଦଳେ ମନ୍ଦ କରେ, ତାହାର ଗୃହକୁ ମନ୍ଦ କେବେ ଛାଡ଼ିବ ନାହିଁ। 14କଳିର ଆରମ୍ଭ କେହି ବନ୍ଧ କାଟି ଜଳ ଛାଡ଼ିଦେବା ପରି; ଏଣୁ କନ୍ଦଳ ହେବା ପୂର୍ବେ ବିବାଦ ଛାଡ଼। 15ଯେ ଦୁଷ୍ଟକୁ ନିର୍ଦ୍ଦୋଷ କରେ ଓ ଯେ ଧାର୍ମିକକୁ ଦୋଷୀ କରେ, ସେ ଦୁହେଁ ସଦାପ୍ରଭୁଙ୍କଠାରେ ସମାନ ରୂପେ ଘୃଣିତ। 16ଜ୍ଞାନ କ୍ରୟ କରିବା ନିମନ୍ତେ ମୂର୍ଖ ହାତରେ କାହିଁକି ଧନ ଥାଏ? ତାହାର ତ ବୁଦ୍ଧି ନାହିଁ। 17ବନ୍ଧୁ ସବୁବେଳେ ପ୍ରେମ କରେ, ପୁଣି ଭାଇ ଦୁର୍ଦ୍ଦଶା କାଳ ନିମନ୍ତେ ଜାତ ଅଟେ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅପ୍ରେଲ 2 ନାଗରିକ ପଞ୍ଜିକାର ଅପ୍ରେଲ 15। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର