Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅପ୍ରେଲ 2027 › ଅପ୍ରେଲ 17

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 17 ଅପ୍ରେଲ 2027

ଶନିବାର · ପାସ୍କା କାଳର ତୃତୀୟ ସପ୍ତାହ

ପର୍ବ ଓ ସନ୍ଥ

ପାସ୍କା କାଳର ତୃତୀୟ ସପ୍ତାହର ଶନିବାର

ସାଧାରଣ ଦିନ · ଉପାସନାର ରଙ୍ଗ: ଧଳା

ଦିନର ପାଠ

ପ୍ରଥମ ପାଠ

ପ୍ରେରି 9:31–42

31ଏହି ପ୍ରକାରେ ସମୁଦାୟ ଯିହୂଦିୟା ପ୍ରଦେଶ, ଗାଲିଲୀ ଓ ଶମିରୋଣ ମଣ୍ଡଳୀ ନିଷ୍ଠାପ୍ରାପ୍ତ ହୋଇ ଓ ପ୍ରଭୁଙ୍କର ଭୟରେ ଆଚରଣ କରି ଶାନ୍ତି ଭୋଗ କଲେ, ପୁଣି, ପବିତ୍ର ଆତ୍ମାଙ୍କ ସାହାଯ୍ୟରେ ବୃଦ୍ଧି ପାଇବାକୁ ଲାଗିଲେ। 32ଇତିମଧ୍ୟରେ ପିତର ସମସ୍ତ ଅଞ୍ଚଳ ଭ୍ରମଣ କରୁ କରୁ ଲୂଦ ନଗରବାସୀ ସାଧୁମାନଙ୍କ ନିକଟକୁ ମଧ୍ୟ ଆସିଲେ। 33ସେ ସ୍ଥାନରେ ସେ ଏନୀୟ ନାମକ ଜଣେ ଲୋକଙ୍କର ଦେଖାପାଇଲେ, ସେ ଆଠ ବର୍ଷ ପର୍ଯ୍ୟନ୍ତ ଶଯ୍ୟାଶାୟୀ ଥିଲେ; ତାହାଙ୍କୁ ପକ୍ଷାଘାତ ହୋଇଥିଲା। 34ପିତର ତାହାଙ୍କୁ କହିଲେ, ଏନୀୟ, ଯୀଶୁ ଖ୍ରୀଷ୍ଟ ତୁମ୍ଭକୁ ସୁସ୍ଥ କରୁଅଛନ୍ତି; ଉଠ, ତୁମ୍ଭର ଶେଯ ସଜାଡ଼। ସେଥିରେ ସେ ସେହିକ୍ଷଣି ଉଠିଲେ। 35ଆଉ, ଲୂଦ ଓ ଶାରୋଣନିବାସୀ ସମସ୍ତେ ତାହାଙ୍କୁ ଦେଖି ପ୍ରଭୁଙ୍କ ପ୍ରତି ଫେରିଲେ। 36ଯାଫୋ ସହରରେ ଟାବୀଥା ନାମକ ଜଣେ ଶିଷ୍ୟା ଥିଲେ, ଅନୁବାଦ କଲେ ଏହି ନାମର ଅର୍ଥ ଦର୍କା। ସେ ନାନା ସତ୍କର୍ମ ଓ ଦାନ-କ୍ରିୟାରେ ପୂର୍ଣ୍ଣ ଥିଲେ। 37ସେହି ସମୟରେ ସେ ପୀଡ଼ିତା ହୋଇ ପ୍ରାଣତ୍ୟାଗ କଲେ, ସେଥିରେ ସେମାନେ ତାହାଙ୍କୁ ସ୍ନାନ କରାଇ ଗୋଟିଏ ଉପର କୋଠରୀରେ ଶୁଆଇଦେଲେ। 38ପୁଣି, ଲୂଦ ଯାଫୋ ସହରର ନିକଟବର୍ତ୍ତୀ ଥିବାରୁ ଶିଷ୍ୟମାନେ ପିତର ସେଠାରେ ଅଛନ୍ତି ବୋଲି ଶୁଣି, ଦୁଇ ଜଣ ଲୋକଙ୍କୁ ତାହାଙ୍କ ନିକଟକୁ ପଠାଇ ଏହା ନିବେଦନ କଲେ, ଆମ୍ଭମାନଙ୍କ ନିକଟକୁ ଆସିବା ପାଇଁ ବିଳମ୍ବ କରନ୍ତୁ ନାହିଁ। 39ଏଣୁ ପିତର ଉଠି ସେମାନଙ୍କ ସାଙ୍ଗରେ ଗଲେ। ସେ ଆସନ୍ତେ, ସେମାନେ ତାହାଙ୍କୁ ସେହି ଉପର କୋଠରୀକୁ ଘେନିଗଲେ, ଆଉ ବିଧବାମାନେ ସମସ୍ତେ ତାହାଙ୍କୁ ଘେରି ବିଳାପ କରୁ କରୁ, ଦର୍କା ସେମାନଙ୍କ ସାଙ୍ଗରେ ଥିବା ସମୟରେ ଯେଉଁ ସବୁ ଅଙ୍ଗରଖା ଓ ବସ୍ତ୍ରଗୁଡ଼ିକ ବୁଣିଥିଲେ, ସେହିସବୁ ଦେଖାଇବାକୁ ଲାଗିଲେ। 40କିନ୍ତୁ, ପିତର ସମସ୍ତଙ୍କୁ ବାହାର କରିଦେଇ ଆଣ୍ଠୁ ମାଡ଼ି ପ୍ରାର୍ଥନା କଲେ, ପୁଣି, ଶବ ଆଡ଼କୁ ବୁଲିପଡ଼ି କହିଲେ, ଟାବୀଥା, ଉଠ। ସେଥିରେ ସେ ଆଖି ମେଲା କଲେ, ଆଉ ପିତରକୁ ଦେଖି ଉଠି ବସିଲେ। 41ପୁଣି, ସେ ହାତ ଦେଇ ତାହାଙ୍କୁ ଉଠାଇଲେ ଏବଂ ସାଧୁମାନଙ୍କୁ ଓ ବିଧବାମାନଙ୍କୁ ଡାକି ତାହାଙ୍କୁ ଜୀବିତ ଦେଖାଇଲେ। 42ଏହି କଥା ଯାଫୋ ସହରର ସବୁଆଡ଼େ ଜଣାପଡ଼ିଲା ଓ ଅନେକେ ପ୍ରଭୁଙ୍କଠାରେ ବିଶ୍ୱାସ କଲେ।

ପ୍ରତିଉତ୍ତର ଗୀତ

ଗୀତ 116:12–17

12ମୋʼ ପ୍ରତି ସଦାପ୍ରଭୁଙ୍କର ସବୁ ମଙ୍ଗଳଦାନ ପାଲଟେ ମୁଁ ତାହାଙ୍କୁ କି ପ୍ରତିଦାନ କରିବି? 13ମୁଁ ପରିତ୍ରାଣର ପାତ୍ର ଗ୍ରହଣ କରିବି ଓ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବି। 14ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଓ ତାହାଙ୍କ ଲୋକମାନଙ୍କ ସାକ୍ଷାତରେ ଆପଣା ମାନତ ପୂର୍ଣ୍ଣ କରିବି। 15ସଦାପ୍ରଭୁଙ୍କ ଦୃଷ୍ଟିରେ ତାହାଙ୍କ ସଦ୍‍ଭକ୍ତମାନଙ୍କ ମରଣ ବହୁମୂଲ୍ୟ ଅଟେ। 16ହେ ସଦାପ୍ରଭୋ, ମୁଁ ନିତାନ୍ତ ତୁମ୍ଭର ଦାସ; ମୁଁ ତୁମ୍ଭର ଦାସ, ତୁମ୍ଭ ଦାସୀର ପୁତ୍ର; ତୁମ୍ଭେ ମୋହର ବନ୍ଧନସବୁ ମୁକୁଳାଇଅଛ। 17ମୁଁ ତୁମ୍ଭ ନିକଟରେ ଧନ୍ୟବାଦାର୍ଥକ ବଳି ଉତ୍ସର୍ଗ କରିବି, ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବି।

ସୁସମାଚାର

ଯୋହ 6:60–69

60ଅତଏବ, ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଅନେକେ ଏହା ଶୁଣି କହିଲେ, ଏ ଘୃଣାଜନକ କଥା, କିଏ ଏହା ଶୁଣି ପାରେ? 61କିନ୍ତୁ ଯୀଶୁ, ତାହାଙ୍କ ଶିଷ୍ୟମାନେ ଯେ ସେ ବିଷୟରେ ବଚସା କରୁଅଛନ୍ତି, ତାହା ଅନ୍ତରରେ ଅବଗତ ହୋଇ ସେମାନଙ୍କୁ କହିଲେ, “ଏହା କଅଣ ତୁମ୍ଭମାନଙ୍କ ବିଘ୍ନର କାରଣ ହେଉଅଛି? 62ତାହାହେଲେ ମନୁଷ୍ୟପୁତ୍ର ପୂର୍ବରେ ଯେଉଁ ସ୍ଥାନରେ ଥିଲେ, ସେ ସ୍ଥାନକୁ ଯେବେ ତାହାଙ୍କୁ ଆରୋହଣ କରିବା ଦେଖିବ, ତେବେ କଅଣ? 63ଆତ୍ମା ଜୀବନଦାୟକ; ମାଂସ କୌଣସି ଉପକାର କରେ ନାହିଁ; ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବାକ୍ୟ କହିଅଛି, ସେହିସବୁ ଆତ୍ମା ଓ ଜୀବନ ଅଟେ। 64କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ବିଶ୍ୱାସ କରୁ ନାହାନ୍ତି।” କାରଣ ଯେଉଁମାନେ ବିଶ୍ୱାସ କରୁ ନ ଥିଲେ ଏବଂ କିଏ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବ, ତାହା ଯୀଶୁ ଆଦ୍ୟରୁ ଜାଣିଥିଲେ। 65ଆଉ ସେ କହିଲେ, “ଏହି ହେତୁ ମୁଁ ତୁମ୍ଭମାନଙ୍କୁ କହିଅଛି, ପିତାଙ୍କଠାରୁ ଅନୁଗ୍ରହ ଦତ୍ତ ନ ହେଲେ କେହି ମୋʼ ନିକଟକୁ ଆସିପାରେ ନାହିଁ।” 66ସେହି ସମୟଠାରୁ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଅନେକେ ବିମୁଖ ହୋଇ ବାହାରିଗଲେ, ପୁଣି, ତାହାଙ୍କ ସାଙ୍ଗରେ ଆଉ ଗମନାଗମନ କଲେ ନାହିଁ। 67ସେଥିରେ ଯୀଶୁ ଦ୍ୱାଦଶଙ୍କୁ ପଚାରିଲେ, “ତୁମ୍ଭେମାନେ ମଧ୍ୟ କଅଣ ଚାଲିଯିବାକୁ ଇଚ୍ଛା କରୁଅଛ?” 68ଶିମୋନ ପିତର ତାହାଙ୍କୁ ଉତ୍ତର ଦେଲେ, ପ୍ରଭୁ, କାହା ପାଖକୁ ଯିବା? ଆପଣଙ୍କ ପାଖରେ ଅନନ୍ତ ଜୀବନର ବାକ୍ୟ ଅଛି; 69ଆଉ, ଆପଣ ଯେ ଈଶ୍ବରଙ୍କର ସେହି ପବିତ୍ର ପୁରୁଷ, ଏହା ଆମ୍ଭେମାନେ ବିଶ୍ୱାସ କରିଅଛୁ ଓ ଜାଣିଅଛୁ।

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର