ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅପ୍ରେଲ 2027 › ଅପ୍ରେଲ 19
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 19 ଅପ୍ରେଲ 2027
ସୋମବାର · ପାସ୍କା କାଳର ଚତୁର୍ଥ ସପ୍ତାହ
ପର୍ବ ଓ ସନ୍ଥ
ପାସ୍କା କାଳର ଚତୁର୍ଥ ସପ୍ତାହର ସୋମବାର
ସାଧାରଣ ଦିନ · ଉପାସନାର ରଙ୍ଗ: ଧଳା
ଦିନର ପାଠ
ପ୍ରଥମ ପାଠ
1ଅଣଯିହୁଦୀମାନେ ମଧ୍ୟ ଯେ ଈଶ୍ବରଙ୍କ ବାକ୍ୟ ଗ୍ରହଣ କରିଅଛନ୍ତି, ଏହା ପ୍ରେରିତମାନେ ଓ ଯିହୂଦିୟା ପ୍ରଦେଶରେ ଥିବା ଭାଇମାନେ ଶୁଣିଲେ। 2ଆଉ, ଯେତେବେଳେ ପିତର ଯିରୂଶାଲମ ସହରକୁ ଆସିଲେ, ସେତେବେଳେ ସୁନ୍ନତି ଶିଷ୍ୟମାନେ ତାହାଙ୍କ ସହିତ ବିବାଦ କରି କହିଲେ, 3ତୁମ୍ଭେ ଅସୁନ୍ନତି ବିଶ୍ୱାସୀମାନଙ୍କ ଗୃହରେ ପ୍ରବେଶ କରି ସେମାନଙ୍କ ସହିତ ଭୋଜନ କରିଅଛ। 4କିନ୍ତୁ ପିତର ବିଷୟଟିର ସବୁ କଥା ବୁଝାଇବାକୁ ଆରମ୍ଭ କରି କହିଲେ, 5ମୁଁ ଯାଫୋ ନଗରରେ ପ୍ରାର୍ଥନା କରୁଥିଲି ଏବଂ ମୂର୍ଚ୍ଛିତ ହୋଇ ଏହି ଦର୍ଶନ ପାଇଲି, ଗୋଟିଏ ପାତ୍ର ତଳକୁ ଆସୁଅଛି, ଯେପରି ଗୋଟିଏ ବଡ଼ ଚାଦର ଚାରି କୋଣରେ ଧରା ହୋଇ ଆକାଶରୁ ଖସାଇ ଦିଆଯାଉଅଛି, 6ଆଉ ତାହା ମୋ ପର୍ଯ୍ୟନ୍ତ ଆସିଲା; ମୁଁ ତାହା ପ୍ରତି ଏକଦୃଷ୍ଟିରେ ଚାହିଁ ଚିନ୍ତା କରିବାକୁ ଲାଗିଲି ଓ ସେଥିରେ ପୃଥିବୀର ଚାରିଗୋଡ଼ିଆ ପ୍ରାଣୀ, ବନ୍ୟ-ପଶୁ, ସରୀସୃପ ଓ ଆକାଶର ପକ୍ଷୀସବୁ ଦେଖିଲି, 7ପୁଣି, ମୋତେ କୁହାଯାଉଥିବା ଗୋଟିଏ ବାଣୀ ମଧ୍ୟ ମୁଁ ଶୁଣିଲି, “ହେ ପିତର, ଉଠ, ବଧ କରି ଭୋଜନ କର।” 8କିନ୍ତୁ ମୁଁ କହିଲି, ନାହିଁ ପ୍ରଭୁ, ଅପବିତ୍ର କି ଅଶୁଚି ବସ୍ତୁ ମୋହର ମୁଖରେ କେବେହେଲେ ପ୍ରବେଶ କରି ନାହିଁ। 9କିନ୍ତୁ ଦ୍ୱିତୀୟ ଥର ଆକାଶରୁ ଗୋଟିଏ ସ୍ୱର ଉତ୍ତର ଦେଲା, “ଈଶ୍ବର ଯାହା ଶୁଚି କରିଅଛନ୍ତି, ତୁମ୍ଭେ ତାହା ଅଶୁଚି ବୋଲି ନ କୁହ।” 10ଏହି ପ୍ରକାରେ ତିନି ଥର ହେଲା, ପରେ ସମସ୍ତ ପୁନର୍ବାର ଆକାଶକୁ ନିଆଗଲା। 11ପୁଣି, ଦେଖନ୍ତୁ, ସେହିକ୍ଷଣି ତିନି ଜଣ ଲୋକ, ଆମ୍ଭେମାନେ ଯେଉଁ ଗୃହରେ ଥିଲୁ, ସେଥିର ସମ୍ମୁଖରେ ଆସି ଠିଆ ହେଲେ, ସେମାନେ କାଇସରିୟାରୁ ମୋ ନିକଟକୁ ପ୍ରେରିତ ହୋଇଥିଲେ। 12ପୁଣି, କିଛି ସନ୍ଦେହ ନ କରି ସେମାନଙ୍କ ସାଙ୍ଗରେ ଯିବା ନିମନ୍ତେ ଆତ୍ମା ମୋତେ କହିଲେ। ଆଉ, ଏହି ଛଅ ଜଣ ଭାଇ ମଧ୍ୟ ମୋ ସାଙ୍ଗରେ ଗଲେ, ପୁଣି, ଆମ୍ଭେମାନେ ସେହି ବ୍ୟକ୍ତିଙ୍କ ଗୃହରେ ପ୍ରବେଶ କଲୁ। 13ସେ କିପରି ଜଣେ ଦୂତଙ୍କର ଦର୍ଶନ ପାଇଥିଲେ, ତାହା ଆମ୍ଭମାନଙ୍କୁ ଜଣାଇଲେ, ସେହି ଦୂତ କିପରି ତାହାଙ୍କ ଗୃହରେ ଠିଆ ହୋଇ କହିଲେ, ଯାଫୋ ସହରକୁ ଲୋକ ପଠାଇ ପିତର ଉପନାମପ୍ରାପ୍ତ ଶିମୋନଙ୍କୁ ଡକାଇ ଆଣ; 14ଯେ ସମସ୍ତ ବାକ୍ୟ ଦ୍ୱାରା ତୁମ୍ଭେ ଓ ତୁମ୍ଭର ସମସ୍ତ ପରିବାର ପରିତ୍ରାଣ ପାଇବ, ସେ ତୁମ୍ଭକୁ ସେହିସବୁ କହିବେ। 15ପରେ ମୁଁ କଥା କହିବାକୁ ଆରମ୍ଭ କରିବା ସମୟରେ ପବିତ୍ର ଆତ୍ମା ପ୍ରଥମରେ ଆମ୍ଭମାନଙ୍କ ଉପରେ ଅବତରଣ କଲା ପରି ସେମାନଙ୍କ ଉପରେ ସୁଦ୍ଧା ଅବତରଣ କଲେ। 16ସେତେବେଳେ ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ମୋହର ସ୍ମରଣରେ ପଡ଼ିଲା, “ଯୋହନ ଜଳରେ ବାପ୍ତିସ୍ମ ଦେଲେ ସତ, କିନ୍ତୁ ତୁମ୍ଭେମାନେ ପବିତ୍ର ଆତ୍ମାରେ ବାପ୍ତିଜିତ ହେବ।” 17ଅତଏବ, ଆମ୍ଭେମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ସମୟରେ ଈଶ୍ବର ଯେପରି ଆମ୍ଭମାନଙ୍କୁ ଦାନ ଦେଇଥିଲେ, ସେହିପରି ଯେବେ ସେମାନଙ୍କୁ ସୁଦ୍ଧା ସମାନ ଦାନ ଦେଲେ, ମୁଁ କିଏ ଯେ ଈଶ୍ବରଙ୍କୁ ପ୍ରତିରୋଧ କରିପାରିଥାନ୍ତି? 18ଏହି ସମସ୍ତ କଥା ଶୁଣିବାରୁ ସେମାନେ ନିରୁତ୍ତର ହେଲେ ଓ ଈଶ୍ବରଙ୍କର ପ୍ରଶଂସା କରି କହିଲେ, ତେବେ ଈଶ୍ବର ଅଣଯିହୁଦୀମାନଙ୍କୁ ମଧ୍ୟ ଜୀବନପ୍ରାପ୍ତି ନିମନ୍ତେ ମନ-ପରିବର୍ତ୍ତନ ଦାନ କରିଅଛନ୍ତି।
ପ୍ରତିଉତ୍ତର ଗୀତ
1ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ମସ୍କୀଲ୍ (ପ୍ରବୋଧନ)। ହରିଣୀ ଯେପରି ଜଳସ୍ରୋତ ପାଇଁ ଧକାଏ, ସେହିପରି ହେ ପରମେଶ୍ୱର, ମୋʼ ପ୍ରାଣ ତୁମ୍ଭ ପାଇଁ ଧକାଏ। 2ପରମେଶ୍ୱରଙ୍କ ନିମନ୍ତେ, ଜୀବିତ ପରମେଶ୍ୱରଙ୍କ ନିମନ୍ତେ ମୋʼ ପ୍ରାଣ ତୃଷିତ; ମୁଁ କେବେ ଆସି ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବି? 43:3ତୁମ୍ଭର ଦୀପ୍ତି ଓ ତୁମ୍ଭର ସତ୍ୟତା ପଠାଅ; ତାହା ମୋହର ପଥଦର୍ଶକ ହେଉ; ତାହା ତୁମ୍ଭ ପବିତ୍ର ପର୍ବତରେ ଓ ତୁମ୍ଭ ଆବାସରେ ମୋତେ ପ୍ରବେଶ କରାଉ। 4ତହିଁରେ ମୁଁ ପରମେଶ୍ୱରଙ୍କ ବେଦି ନିକଟକୁ ଓ ମୋହର ପରମାନନ୍ଦଜନକ ପରମେଶ୍ୱରଙ୍କ ନିକଟକୁ ଯିବି; ଆଉ, ହେ ପରମେଶ୍ୱର, ମୋହର ପରମେଶ୍ୱର, ମୁଁ ବୀଣା ଯନ୍ତ୍ରରେ ତୁମ୍ଭର ପ୍ରଶଂସା କରିବି।
ସୁସମାଚାର
1“ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ଦ୍ୱାର ଦେଇ ମେଷଶାଳାରେ ପ୍ରବେଶ ନ କରେ, ମାତ୍ର ଅନ୍ୟ କୌଣସି ସ୍ଥାନରେ ଚଢ଼ି ପ୍ରବେଶ କରେ, ସେ ଚୋର ଓ ଡକାଇତ; 2କିନ୍ତୁ ଯେ ଦ୍ୱାର ଦେଇ ପ୍ରବେଶ କରେ, ସେ ମେଷପାଳକ। 3ଦ୍ୱାରୀ ତାହା ନିମନ୍ତେ ଦ୍ୱାର ଫିଟାଇଦିଏ, ପୁଣି, ମେଷଗୁଡ଼ିକ ତାହାର ସ୍ୱର ଶୁଣନ୍ତି, ଆଉ ସେ ନିଜର ମେଷସବୁକୁ ନାମ ଧରି ଡାକି ବାହାର କରି ଘେନିଯାଏ। 4ସେ ନିଜର ମେଷସବୁକୁ ବାହାର କଲା ଉତ୍ତାରେ ସେମାନଙ୍କ ଆଗେ ଆଗେ ଚାଲେ ଓ ମେଷଗୁଡ଼ିକ ତାହାର ପଛେ ପଛେ ଚାଲନ୍ତି, କାରଣ ସେମାନେ ତାହାର ସ୍ୱର ଚିହ୍ନନ୍ତି; 5କିନ୍ତୁ ସେମାନେ ଅଚିହ୍ନା ଲୋକର ପଛେ ପଛେ କେବେ ହେଁ ଚାଲିବେ ନାହିଁ, ମାତ୍ର ତାହା ପାଖରୁ ପଳାଇଯିବେ, କାରଣ ସେମାନେ ଅଚିହ୍ନା ଲୋକମାନଙ୍କର ସ୍ୱର ଚିହ୍ନନ୍ତି ନାହିଁ।” 6ଯୀଶୁ ସେମାନଙ୍କୁ ଏହି ଉପମା କହିଲେ, କିନ୍ତୁ ସେ ସେମାନଙ୍କୁ ଯାହା ଯାହା କହୁଥିଲେ, ସେହିସବୁ କଅଣ ବୋଲି ସେମାନେ ବୁଝିଲେ ନାହିଁ। 7ତେଣୁ ଯୀଶୁ ପୁନର୍ବାର କହିଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୁଁ ମେଷଗୁଡ଼ିକର ଦ୍ୱାର। 8ଯେତେ ଜଣ ମୋʼ ପୂର୍ବରେ ଆସିଅଛନ୍ତି, ସେମାନେ ସମସ୍ତେ ଚୋର ଓ ଡକାଇତ, କିନ୍ତୁ ମେଷସବୁ ସେମାନଙ୍କ କଥା ଶୁଣିଲେ ନାହିଁ। 9ମୁଁ ଦ୍ୱାର, ଯଦି କେହି ମୋʼ ଦେଇ ପ୍ରବେଶ କରେ, ତାହାହେଲେ ସେ ରକ୍ଷା ପାଇବ ଏବଂ ଭିତରକୁ ଆସି ଓ ବାହାରକୁ ଯାଇ ଚରା ପାଇବ। 10ଚୋର କେବଳ ଚୋରି, ବଧ ଓ ବିନାଶ କରିବା ନିମନ୍ତେ ଆସେ; ସେମାନେ ଯେପରି ଜୀବନ ପାଆନ୍ତି ଓ ପ୍ରଚୁର ଭାବରେ ପାଆନ୍ତି, ଏଥିନିମନ୍ତେ ମୁଁ ଆସିଅଛି।
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର