Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅପ୍ରେଲ 2027 › ଅପ୍ରେଲ 27

ଅର୍ଥୋଡକ୍ସ ପଞ୍ଜିକା · 14 ଅପ୍ରେଲ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 27 ଅପ୍ରେଲ 2027

ମଙ୍ଗଳବାର · ପବିତ୍ର ସପ୍ତାହ

ପର୍ବ ଓ ସନ୍ଥ

ମହାନ ଓ ପବିତ୍ର ମଙ୍ଗଳବାର

ମହା ଉପବାସ

କଠୋର ଉପବାସ (ଶୁଖିଲା ଆହାର: ରୁଟି, ପନିପରିବା, ଫଳ)

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ସୁସମାଚାର (ବରଙ୍କ ପ୍ରଭାତୀ ପ୍ରାର୍ଥନା)

ମାଥି 22:15–23:39

15ସେତେବେଳେ ଫାରୂଶୀମାନେ ଯାଇ ତାହାଙ୍କୁ ବାକ୍ୟ ଦ୍ୱାରା ଫାନ୍ଦରେ ପକାଇବା ନିମନ୍ତେ ମନ୍ତ୍ରଣା କଲେ। 16ଆଉ, ସେମାନେ ହେରୋଦୀୟମାନଙ୍କ ସହିତ ଆପଣା ଶିଷ୍ୟମାନଙ୍କୁ ତାହାଙ୍କ ନିକଟକୁ କହି ପଠାଇଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ସତ୍ୟ ଏବଂ ସତ୍ୟ ରୂପେ ଈଶ୍ବରଙ୍କ ମାର୍ଗ ଶିକ୍ଷା ଦିଅନ୍ତି ପୁଣି, କାହାରିକୁ ଭୟ କରନ୍ତି ନାହିଁ, କାରଣ ଆପଣ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ। 17ଅତଏବ ଆମ୍ଭମାନଙ୍କୁ କୁହନ୍ତୁ, ଆପଣଙ୍କର ମତ କଅଣ? କାଇସର ସମ୍ରାଟଙ୍କୁ କର ଦେବା ବିଧିସଙ୍ଗତ କି ନୁହେଁ? 18କିନ୍ତୁ ଯୀଶୁ ସେମାନଙ୍କର ଦୁଷ୍ଟତା ଜାଣି କହିଲେ, “ରେ କପଟୀମାନେ, କାହିଁକି ମୋତେ ପରୀକ୍ଷା କରୁଅଛ?” 19“ସେହି କରର ମୁଦ୍ରା ମୋତେ ଦେଖାଅ।” ତହିଁରେ ସେମାନେ ତାହାଙ୍କ ପାଖକୁ ଗୋଟିଏ ମୁଦ୍ରା ଆଣିଲେ। 20ସେ ସେମାନଙ୍କୁ ପଚାରିଲେ, ଏହି ମୂର୍ତ୍ତି ଓ ନାମ କାହାର? 21ସେମାନେ କହିଲେ, କାଇସରଙ୍କର। ସେଥିରେ ସେ ସେମାନଙ୍କୁ କହିଲେ, “ତେବେ କାଇସର ସମ୍ରାଟଙ୍କର ଯାହା, ତାହା କାଇସରଙ୍କୁ ଦିଅ; ପୁଣି, ଈଶ୍ବରଙ୍କର ଯାହା, ତାହା ଈଶ୍ବରଙ୍କୁ ଦିଅ।” 22ସେମାନେ ଏହା ଶୁଣି ଚମତ୍କୃତ ହୋଇ ତାହାଙ୍କୁ ଛାଡ଼ି ଚାଲିଗଲେ। 23ପୁନରୁତ୍ଥାନ ନାସ୍ତି କରୁଥିବା ସାଦ୍ଦୂକୀମାନେ ସେହି ଦିନ ତାହାଙ୍କ ପାଖକୁ ଆସି ପଚାରିଲେ, 24ହେ ଗୁରୁ, ମୋଶା କହିଅଛନ୍ତି ଯେ, ଯଦି କେହି ନିଃସନ୍ତାନ ହୋଇ ମରେ, ତେବେ ତାହାର ଭାଇ ତାହାର ଭାର୍ଯ୍ୟାକୁ ବିବାହ କରି ଆପଣା ଭାଇ ନିମନ୍ତେ ବଂଶ ଉତ୍ପନ୍ନ କରିବ। 25ଦେଖନ୍ତୁ, ଆମ୍ଭମାନଙ୍କ ମଧ୍ୟରେ ସାତ ଭାଇ ଥିଲେ; ପ୍ରଥମଟି ବିବାହ କରି ମରିଗଲା, ପୁଣି, ନିଃସନ୍ତାନ ଥିବାରୁ ଆପଣା ଭାଇ ପାଇଁ ନିଜ ଭାର୍ଯ୍ୟାକୁ ଛାଡ଼ିଗଲା; 26ଦ୍ୱିତୀୟ, ତୃତୀୟ ଆଦି ସପ୍ତମ ଜଣ ପର୍ଯ୍ୟନ୍ତ ମଧ୍ୟ ସେହି ପ୍ରକାର କଲେ। 27ସମସ୍ତଙ୍କ ଶେଷରେ ସ୍ତ୍ରୀଟି ମରିଗଲା। 28ତେବେ ପୁନରୁତ୍ଥାନରେ ସେହି ସାତ ଜଣଙ୍କ ମଧ୍ୟରୁ ସେ କାହାର ସ୍ତ୍ରୀ ହେବ? ସମସ୍ତେ ତ ତାହାକୁ ବିବାହ କରିଥିଲେ। 29ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ଧର୍ମଶାସ୍ତ୍ର ପୁଣି, ଈଶ୍ବରଙ୍କ ଶକ୍ତି ମଧ୍ୟ ନ ଜାଣି ଭ୍ରାନ୍ତ ହେଉଅଛ। 30କାରଣ ପୁନରୁତ୍ଥାନରେ ଲୋକେ ବିବାହ କରନ୍ତି ନାହିଁ, କିମ୍ବା ବିବାହିତ ହୁଅନ୍ତି ନାହିଁ, କିନ୍ତୁ ସ୍ୱର୍ଗସ୍ଥ ଦୂତମାନଙ୍କ ପରି ରୁହନ୍ତି। 31ମାତ୍ର ମୃତମାନଙ୍କ ପୁନରୁତ୍ଥାନ ବିଷୟରେ ଈଶ୍ବର ତୁମ୍ଭମାନଙ୍କୁ ଯାହା କହିଅଛନ୍ତି, ତାହା କି ତୁମ୍ଭେମାନେ ପାଠ କରି ନାହଁ? 32‘ଆମ୍ଭେ ଅବ୍ରହାମଙ୍କ ଈଶ୍ବର, ଇସ୍‌ହାକଙ୍କ ଈଶ୍ବର ଓ ଯାକୁବଙ୍କ ଈଶ୍ବର।’ ସେ ମୃତମାନଙ୍କ ଈଶ୍ବର ନୁହଁନ୍ତି, ମାତ୍ର ଜୀବିତମାନଙ୍କର।” 33ଲୋକମାନେ ଏହା ଶୁଣି ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ। 34ସେ ସାଦ୍ଦୂକୀମାନଙ୍କୁ ନିରୁତ୍ତର କରିଅଛନ୍ତି, ଏହା ଶୁଣି ଫାରୂଶୀମାନେ ଏକତ୍ର ହେଲେ, 35ଆଉ ସେମାନଙ୍କ ମଧ୍ୟରୁ ଜଣେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ତାହାଙ୍କୁ ପରୀକ୍ଷା କରି ପଚାରିଲେ, 36ହେ ଗୁରୁ, ମୋଶାଙ୍କ ବ୍ୟବସ୍ଥା ମଧ୍ୟରେ କି ପ୍ରକାର ଆଜ୍ଞା ଶ୍ରେଷ୍ଠ? 37ସେ ତାହାଙ୍କୁ କହିଲେ, “‘ତୁମ୍ଭେ ଆପଣାର ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ ଓ ସମସ୍ତ ମନ ଦେଇ ପ୍ରଭୁ, ଆପଣା ଈଶ୍ବରଙ୍କୁ ପ୍ରେମ କର।’ 38ଏହା ହିଁ ଶ୍ରେଷ୍ଠ ଓ ପ୍ରଥମ ଆଜ୍ଞା। 39ଦ୍ୱିତୀୟଟି ଏହାର ସଦୃଶ, ‘ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।’ 40ଏହି ଦୁଇ ଆଜ୍ଞା ଉପରେ ସମସ୍ତ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କର ଧର୍ମଶାସ୍ତ୍ର ନିର୍ଭର କରେ।” 41ଫାରୂଶୀମାନେ ଏକତ୍ର ହୋଇଥିବା ସମୟରେ ଯୀଶୁ ସେମାନଙ୍କୁ ପଚାରିଲେ, 42“ଖ୍ରୀଷ୍ଟଙ୍କ ବିଷୟରେ ତୁମ୍ଭମାନଙ୍କର ମତ କଅଣ? ସେ କାହାର ସନ୍ତାନ? ସେମାନେ ତାହାଙ୍କୁ କହିଲେ, ଦାଉଦଙ୍କର।” 43ଯୀଶୁ ସେମାନଙ୍କୁ କହିଲେ, “ତେବେ ଦାଉଦ କିପ୍ରକାରେ ଆତ୍ମାଙ୍କ ଦ୍ୱାରା ତାହାଙ୍କୁ ‘ପ୍ରଭୁ’ ବୋଲି କହନ୍ତି? 44‘ଯଥା, ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ, ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭ ପାଦ ତଳେ ରଖି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ।’ 45ଅତଏବ, ଦାଉଦ ଯଦି ତାହାଙ୍କୁ ‘ପ୍ରଭୁ’ ବୋଲି କହନ୍ତି, ତେବେ ସେ କିପ୍ରକାରେ ତାହାଙ୍କର ସନ୍ତାନ?” 46ସେଥିରେ କେହି ତାହାଙ୍କୁ ପଦେ ହେଲେ ଉତ୍ତର ଦେଇ ପାରିଲେ ନାହିଁ, ପୁଣି, ସେହି ଦିନଠାରୁ କେହି ତାହାଙ୍କୁ ପ୍ରଶ୍ନ ପଚାରିବାକୁ ସାହସ କଲେ ନାହିଁ। 23:1ସେହି ସମୟରେ ଯୀଶୁ ଲୋକସମୂହ ଓ ଆପଣା ଶିଷ୍ୟମାନଙ୍କୁ କହିଲେ, 2“ଶାସ୍ତ୍ରୀ ଓ ଫାରୂଶୀମାନେ ମୋଶାଙ୍କ ବ୍ୟବସ୍ଥାକୁ ବ୍ୟାଖ୍ୟା କରିବାର ଅଧିକାର ପାଇଅଛନ୍ତି। 3ଅତଏବ ସେମାନେ ତୁମ୍ଭମାନଙ୍କୁ ଯାହା କିଛି କହନ୍ତି, ତାହା ମାନ ଓ ପାଳନ କର, ମାତ୍ର ସେମାନଙ୍କ କର୍ମ ଅନୁସାରେ କର୍ମ କର ନାହିଁ, କାରଣ ସେମାନେ କହନ୍ତି, କିନ୍ତୁ କରନ୍ତି ନାହିଁ। 4ସେମାନେ ଗୁରୁ ଭାର ବହନ କରି ମନୁଷ୍ୟମାନଙ୍କ କାନ୍ଧରେ ଥୋଇଦିଅନ୍ତି, କିନ୍ତୁ ନିଜେ ଅଙ୍ଗୁଳି ଦେଇ ତାହା ଟେକିବାକୁ ଇଚ୍ଛା କରନ୍ତି ନାହିଁ। 5ସେମାନେ ଲୋକ ଦେଖାଇବା ପାଇଁ ଆପଣା ଆପଣାର ସମସ୍ତ କ୍ରିୟାକର୍ମ କରନ୍ତି, କାରଣ ସେମାନେ ନିଜ ନିଜର କବଚ ପ୍ରଶସ୍ତ କରନ୍ତି ଓ ବସ୍ତ୍ରର ଝୁମ୍ପା ବଡ଼ କରନ୍ତି, 6ଆଉ ଭୋଜନରେ ପ୍ରଧାନ ସ୍ଥାନ ଓ ସମାଜଗୃହରେ ପ୍ରଧାନ ଆସନ, 7ପୁଣି, ହାଟବଜାରରେ ନମସ୍କାର ପାଇବାକୁ ଓ ଲୋକଙ୍କ ଦ୍ୱାରା ଗୁରୁ ବୋଲି ସମ୍ବୋଧିତ ହେବାକୁ ଭଲ ପାଆନ୍ତି। 8କିନ୍ତୁ ତୁମ୍ଭେମାନେ ଗୁରୁ ବୋଲି ସମ୍ବୋଧିତ ହୁଅ ନାହିଁ, କାରଣ ତୁମ୍ଭମାନଙ୍କର ଗୁରୁ ଜଣେ, ପୁଣି, ତୁମ୍ଭେମାନେ ସମସ୍ତେ ଭାଇ। 9ଆଉ ପୃଥିବୀରେ କାହାକୁ ହିଁ ପିତା ବୋଲି ଡାକ ନାହିଁ, କାରଣ ତୁମ୍ଭମାନଙ୍କର ପିତା ଜଣେ, ସେ ସ୍ୱର୍ଗରେ ଅଛନ୍ତି। 10ଆଉ ତୁମ୍ଭେମାନେ ନେତା ବୋଲି ସମ୍ବୋଧିତ ହୁଅ ନାହିଁ, କାରଣ ତୁମ୍ଭମାନଙ୍କର ନେତା ଜଣେ, ସେ ଖ୍ରୀଷ୍ଟ। 11କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଲୋକ ଶ୍ରେଷ୍ଠ, ସେ ତୁମ୍ଭମାନଙ୍କର ସେବକ ହେବ। 12ଆଉ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, ପୁଣି, ଯେ କେହି ଆପଣାକୁ ନତ କରେ ତାହାକୁ ଉନ୍ନତ କରାଯିବ।” 13“କିନ୍ତୁ ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ୱର୍ଗରାଜ୍ୟ ବନ୍ଦ କରୁଥାଅ; ତୁମ୍ଭେମାନେ ତ ନିଜେ ପ୍ରବେଶ କରୁ ନାହଁ, ପୁଣି, ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ। 14[ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଛଳରେ ଦୀର୍ଘ ପ୍ରାର୍ଥନା କରିବା ସଙ୍ଗେ ସଙ୍ଗେ ବିଧବାମାନଙ୍କର ଗୃହସବୁ ଗ୍ରାସ କରୁଥାଅ; ଏଣୁ ତୁମ୍ଭେମାନେ ଗୁରୁତର ଦଣ୍ଡ ପାଇବ।] 15ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଜଣକୁ ତୁମ୍ଭମାନଙ୍କର ଧର୍ମାବଲମ୍ବୀ କରିବା ପାଇଁ ଜଳସ୍ଥଳ ଭ୍ରମଣ କରୁଥାଅ, ପୁଣି, ଯେତେବେଳେ ସେ ହୁଏ, ସେତେବେଳେ ତାହାକୁ ତୁମ୍ଭମାନଙ୍କ ଅପେକ୍ଷା ଦୁଇ ଗୁଣ ନର୍କର ପାତ୍ର କରୁଥାଅ। 16ହାୟ, ଦଣ୍ଡର ପାତ୍ର ଅନ୍ଧ ପଥପ୍ରଦର୍ଶକମାନେ, ତୁମ୍ଭେମାନେ କହୁଥାଅ, କେହି ମନ୍ଦିରର ଶପଥ କଲେ ତାହା କିଛି ନୁହେଁ, ମାତ୍ର ଯେ କେହି ମନ୍ଦିରସ୍ଥ ସ୍ୱର୍ଣ୍ଣର ଶପଥ କରେ, ସେ ତଦ୍ୱାରା ଆବଦ୍ଧ। 17ରେ ମୂଢ଼ ଓ ଅନ୍ଧମାନେ, ସ୍ୱର୍ଣ୍ଣ କିମ୍ବା ସେହି ସ୍ୱର୍ଣ୍ଣକୁ ପବିତ୍ର କରିଅଛି ଯେଉଁ ମନ୍ଦିର, ଏହି ଦୁଇ ମଧ୍ୟରେ କଅଣ ଶ୍ରେଷ୍ଠ? 18ଆହୁରି କହୁଥାଅ, କେହି ବେଦିର ଶପଥ କଲେ ତାହା କିଛି ନୁହେଁ, ମାତ୍ର ଯେ କେହି ତାହା ଉପରେ ଥିବା ନୈବେଦ୍ୟର ଶପଥ କରେ, ସେ ତଦ୍ୱାରା ଆବଦ୍ଧ। 19ରେ ଅନ୍ଧମାନେ, ନୈବେଦ୍ୟ କିମ୍ବା ସେହି ନୈବେଦ୍ୟକୁ ପବିତ୍ର କରେ ଯେଉଁ ବେଦି, ଏହି ଦୁଇ ମଧ୍ୟରେ କେଉଁଟା ଶ୍ରେଷ୍ଠ? 20ଅତଏବ ଯେଉଁ ଲୋକ ବେଦିର ଶପଥ କରେ, ସେ ତ ତାହା ଓ ତାହା ଉପରେ ଥିବା ପଦାର୍ଥର ଶପଥ କରେ; 21ଆଉ ଯେ ମନ୍ଦିରର ଶପଥ କରେ, ସେ ମନ୍ଦିର ଓ ତନ୍ନିବାସୀଙ୍କର ଶପଥ କରେ; 22ପୁଣି, ଯେ ସ୍ୱର୍ଗର ଶପଥ କରେ, ସେ ଈଶ୍ବରଙ୍କ ସିଂହାସନ ଓ ତଦୁପବିଷ୍ଟଙ୍କର ଶପଥ କରେ। 23ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ପୋଦିନା, ପାନମହୁରୀ ଓ ଜୀରାର ଦଶମାଂଶ ଦେଉଥାଅ, ଆଉ ମୋଶାଙ୍କ ବ୍ୟବସ୍ଥାର ଗୁରୁତର ବିଷୟଗୁଡ଼ିକ, ନ୍ୟାୟବିଚାର, ଦୟା ଓ ବିଶ୍ୱାସ, ଏହାସବୁ ପରିତ୍ୟାଗ କରିଅଛ; କିନ୍ତୁ ଏହି ସମସ୍ତ ପାଳନ କରିବା ଓ ଅନ୍ୟସବୁ ପରିତ୍ୟାଗ ନ କରିବା ଉଚିତ। 24ରେ ଅନ୍ଧ ପଥପ୍ରଦର୍ଶକମାନେ, ତୁମ୍ଭେମାନେ ମଶାକୁ ଛାଣୁଥାଅ, କିନ୍ତୁ ଓଟକୁ ଗିଳୁଥାଅ। 25ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଗିନା ଓ ଥାଳିର ବାହାର ସଫା କରୁଥାଅ, ମାତ୍ର ଭିତରେ ସେଗୁଡ଼ାକ ଲୁଣ୍ଠନକର୍ମ ଓ ଇନ୍ଦ୍ରିୟସେବାରେ ପରିପୂର୍ଣ୍ଣ। 26ହେ ଅନ୍ଧ ଫାରୂଶୀ, ଆଗେ ଗିନାର ଭିତର ସଫା କର, ଯେପରି ସେଥିର ବାହାର ମଧ୍ୟ ସଫା ହେବ। 27ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଧଳା ରଙ୍ଗର ସମାଧି ସରୂପ। ତାହା ବାହାରେ ସୁନ୍ଦର ଦେଖାଯାଏ, କିନ୍ତୁ ଭିତରେ ମୃତମାନଙ୍କ ଅସ୍ଥି ଓ ସର୍ବ ପ୍ରକାର ଅଶୁଚିତାରେ ପରିପୂର୍ଣ୍ଣ; 28ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ବାହାରେ ଲୋକଙ୍କ ଦୃଷ୍ଟିରେ ଧାର୍ମିକ ଦେଖାଯାଅ, କିନ୍ତୁ ଭିତରେ କପଟ ଓ ଅଧର୍ମରେ ପରିପୂର୍ଣ୍ଣ।” 29“ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଭାବବାଦୀମାନଙ୍କର ସମାଧି ନିର୍ମାଣ କରି ଓ ଧାର୍ମିକମାନଙ୍କ ସମାଧିସ୍ତମ୍ଭ ସଜାଇ କହୁଥାଅ, 30ଆମ୍ଭେମାନେ ଯେବେ ଆମ୍ଭମାନଙ୍କର ପିତୃ-ପୁରୁଷଙ୍କ ସମୟରେ ଥାଆନ୍ତୁ, ତେବେ ଭାବବାଦୀମାନଙ୍କ ରକ୍ତପାତରେ ସେମାନଙ୍କର ସହଭାଗୀ ହୋଇ ନ ଥାଆନ୍ତୁ। 31ଏଣୁ ତୁମ୍ଭେମାନେ ଯେ ଭାବବାଦୀଙ୍କ ହତ୍ୟାକାରୀମାନଙ୍କର ସନ୍ତାନ ଅଟ, ସେ ବିଷୟରେ ତୁମ୍ଭେମାନେ ହିଁ ଆପଣା ଆପଣା ବିଷୟରେ ସାକ୍ଷ୍ୟ ଦେଉଅଛ। 32ତୁମ୍ଭେମାନେ ନିଜ ନିଜ ପିତୃ-ପୁରୁଷଙ୍କର ପରିମାଣ ପୂର୍ଣ୍ଣ କର। 33ଆରେ ସର୍ପଗୁଡ଼ାକ, ଆରେ କାଳସର୍ପର ବଂଶ, ତୁମ୍ଭେମାନେ କିପ୍ରକାରେ ନର୍କ ଦଣ୍ଡରୁ ରକ୍ଷା ପାଇବ? 34ଏଣୁ ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଭାବବାଦୀ, ଜ୍ଞାନୀ ଓ ଶାସ୍ତ୍ରୀମାନଙ୍କୁ ପ୍ରେରଣ କରୁଅଛି; ସେମାନଙ୍କ ମଧ୍ୟରୁ କାହା କାହାକୁ ତୁମ୍ଭେମାନେ ହତ୍ୟା କରିବ ଓ କ୍ରୁଶରେ ବଧ କରିବ, ଆଉ କାହା କାହାକୁ ତୁମ୍ଭମାନଙ୍କ ସମାଜଗୃହରେ କୋରଡ଼ା ମାରିବ ଓ ନଗରକୁ ନଗର ତାଡ଼ନା କରିବ, 35ଯେପରି ଧାର୍ମିକ ହେବଲଙ୍କ ରକ୍ତପାତଠାରୁ, ଯେଉଁ ବେରିଖୀୟଙ୍କ ପୁତ୍ର ଜିଖରୀୟଙ୍କୁ ତୁମ୍ଭେମାନେ ମନ୍ଦିରର ପବିତ୍ର ସ୍ଥାନ ଓ ବେଦିର ମଧ୍ୟସ୍ଥଳରେ ବଧ କଲ, ତାହାଙ୍କ ରକ୍ତପାତ ପର୍ଯ୍ୟନ୍ତ ପୃଥିବୀରେ ଯେତେ ଧାର୍ମିକ ଲୋକଙ୍କର ରକ୍ତପାତ ହୋଇଅଛି, ସେହି ସମସ୍ତ ତୁମ୍ଭମାନଙ୍କ ଉପରେ ଘଟିବ। 36ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ବର୍ତ୍ତମାନ ପୁରୁଷ ଉପରେ ଏହି ସମସ୍ତ ଘଟିବ।” 37“ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷ ତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ। 38ଦେଖ, ତୁମ୍ଭମାନଙ୍କ ଘର ତୁମ୍ଭମାନଙ୍କ ହାତରେ ଛାଡ଼ି ଦିଆଯାଉଅଛି। 39କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ‘ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ,’ ତୁମ୍ଭେମାନେ ଏହି କଥା ନ କହିବା ପର୍ଯ୍ୟନ୍ତ ଆଜିଠାରୁ ମୋତେ ନିଶ୍ଚୟ ଆଉ ଦେଖିବ ନାହିଁ।”

ଷଷ୍ଠ ଘଣ୍ଟା

ଯିହି 1:21–28

21ସେମାନେ ଗମନ କଲା ବେଳେ ଏମାନେ ଗମନ କଲେ ଓ ସେମାନେ ଠିଆ ହେବା ବେଳେ ଏମାନେ ଠିଆ ହେଲେ; ଆଉ, ସେମାନେ ଭୂମିରୁ ଉତ୍ଥାପିତ ହେବା ବେଳେ ସେମାନଙ୍କ ପାର୍ଶ୍ୱରେ ଚକ୍ରସବୁ ଉତ୍ଥାପିତ ହେଲେ; କାରଣ ଜୀବିତ ପ୍ରାଣୀର ପରମେଶ୍ୱରଙ୍କ ଆତ୍ମା ଚକ୍ରରେ ଥିଲା। 22ପୁଣି, ସେହି ଜୀବିତ ପ୍ରାଣୀର ମସ୍ତକ ଉପରେ ଶୂନ୍ୟର ଏକ ଆକୃତି ଥିଲା, ତାହା ଭୟଙ୍କର ସ୍ପଟିକ ତୁଲ୍ୟ ଆଭାବିଶିଷ୍ଟ ହୋଇ ସେମାନଙ୍କ ମସ୍ତକର ଊର୍ଦ୍ଧ୍ୱରେ ବିସ୍ତାରିତ ଥିଲା। 23ଆଉ, ସେହି ଶୂନ୍ୟର ତଳେ ସେମାନଙ୍କର ପକ୍ଷସବୁ ପରସ୍ପର ପ୍ରତି ପ୍ରସାରିତ ହୋଇ ସମାନ ଥିଲା; ପ୍ରତ୍ୟେକର ଶରୀର ଆଚ୍ଛାଦନ କରିବା ପାଇଁ ଏପାଖରେ ଦୁଇ ଓ ପ୍ରତ୍ୟେକର ଗାତ୍ର ଆଚ୍ଛାଦନ କରିବା ପାଇଁ ସେପାଖରେ ଦୁଇ ପକ୍ଷ ଥିଲା। 24ଆଉ, ସେମାନେ ଗମନ କରିବା ବେଳେ ମୁଁ ସେମାନଙ୍କ ପକ୍ଷୀର ଶବ୍ଦ ଶୁଣିଲି, ତାହା ମହା ଜଳରାଶିର କଲ୍ଲୋଳ ତୁଲ୍ୟ, ସର୍ବଶକ୍ତିମାନଙ୍କର ରବ ତୁଲ୍ୟ, ସୈନ୍ୟଦଳର ଶବ୍ଦ ତୁଲ୍ୟ କୋଳାହଳ ଶବ୍ଦ; ସେମାନେ ଠିଆ ହେବା ବେଳେ ଆପଣା ଆପଣା ପକ୍ଷ ସଙ୍କୋଚ କଲେ। 25ପୁଣି, ସେମାନଙ୍କର ମସ୍ତକର ଉପରିସ୍ଥ ଶୂନ୍ୟର ଉପରେ ଏକ ରବ ହେଲା; ସେମାନେ ଠିଆ ହେବା ବେଳେ ଆପଣା ଆପଣା ପକ୍ଷ ସଙ୍କୋଚ କଲେ। 26ପୁଣି, ସେମାନଙ୍କ ମସ୍ତକର ଉପରିସ୍ଥ ଶୂନ୍ୟର ଊର୍ଦ୍ଧ୍ୱରେ ନୀଳକାନ୍ତମଣି ସଦୃଶ ଏକ ସିଂହାସନର ଆକୃତି ଥିଲା; ଆଉ, ସେହି ସିଂହାସନର ଆକୃତି ଉପରେ ମନୁଷ୍ୟ ସଦୃଶ୍ୟ ଏକ ଆକୃତି ତହିଁର ଊର୍ଦ୍ଧ୍ୱ ଭାଗରେ ଥିଲା। 27ଆଉ, ମୁଁ ତାହାଙ୍କ କଟିଦେଶର ଆକୃତି ଓ ତହିଁର ଊର୍ଦ୍ଧ୍ୱରୁ, ତହିଁର ଭିତରେ ଓ ଚତୁର୍ଦ୍ଦିଗରେ ଅଗ୍ନି ସଦୃଶ ଉତ୍ତପ୍ତ ଧାତୁର ଆଭା ତୁଲ୍ୟ ଆଭା ଦେଖିଲି ଓ ତାହାଙ୍କ କଟିଦେଶର ଆକୃତିଠାରୁ ତଳ ପର୍ଯ୍ୟନ୍ତ ଅଗ୍ନି ସଦୃଶ ଆଭା ଦେଖିଲି ଓ ତାହାଙ୍କ ଚତୁର୍ଦ୍ଦିଗରେ ତେଜ ଥିଲା। 28ବୃଷ୍ଟି ଦିନରେ ମେଘରେ ଧନୁର ଯେପରି ଆଭା, ସେହିପରି ସେହି ଚତୁର୍ଦ୍ଦିଗସ୍ଥ ତେଜ ଥିଲା। ଏହା ସଦାପ୍ରଭୁଙ୍କ ପ୍ରତାପର ମୂର୍ତ୍ତିର ଆଭା। ପୁଣି, ମୁଁ ତାହା ଦେଖି ମୁହଁ ମାଡ଼ି ପଡ଼ିଲି, ତହିଁରେ ମୁଁ ବାକ୍ୟବାଦୀ ଏକ ବ୍ୟକ୍ତିଙ୍କର ରବ ଶୁଣିଲି।

ସନ୍ଧ୍ୟା ପ୍ରାର୍ଥନା: ପାଠ

ଯାତ୍ରା 2:5–10

5ଏଥିଉତ୍ତାରେ ଫାରୋଙ୍କ କନ୍ୟା ସ୍ନାନ ନିମନ୍ତେ ନଦୀକୁ ଆସନ୍ତେ, ତାହାର ସହଚରୀଗଣ ନଦୀ ତୀରରେ ଭ୍ରମଣ କରୁଥିଲେ। ଏଥିମଧ୍ୟରେ ସେ ନଳବନରେ ଗୋଟିଏ ପେଡ଼ି ଦେଖି ତାହା ଆଣିବାକୁ ଆପଣା ଦାସୀକୁ ପଠାଇଲା। 6ସେ ପେଡ଼ି ଫିଟାଇ ସେହି ବାଳକକୁ ଦେଖିଲା; ଆଉ ଦେଖ, ସେହି ବାଳକଟି କାନ୍ଦୁଅଛି; ତହିଁରେ ସେ ଦୟା ବହି କହିଲା, “ଏଇଟି ଜଣେ ଏବ୍ରୀୟ ବାଳକ।” 7ସେତେବେଳେ ତାହାର ଭଗିନୀ ଫାରୋଙ୍କର କନ୍ୟାକୁ କହିଲା, “ମୁଁ ଯାଇ ଆପଣଙ୍କ ନିମନ୍ତେ ଏହି ବାଳକକୁ ସ୍ତନ୍ୟପାନ କରାଇବା ପାଇଁ କି ଏବ୍ରୀୟା ସ୍ତ୍ରୀଗଣ ମଧ୍ୟରୁ ଜଣେ ଧାତ୍ରୀକୁ ଡାକି ଆଣିବି?” 8ତହିଁରେ ଫାରୋଙ୍କର କନ୍ୟା କହିଲା, “ଯାଅ,” ତହୁଁ ସେ ବାଳିକା ଯାଇ ସେହି ବାଳକର ମାତାକୁ ଡାକି ଆଣିଲା। 9ତେବେ ଫାରୋଙ୍କର କନ୍ୟା ତାହାଙ୍କୁ କହିଲା, “ତୁମ୍ଭେ ଏ ବାଳକକୁ ନେଇ ମୋʼ ନିମନ୍ତେ ସ୍ତନ୍ୟପାନ କରାଅ; ମୁଁ ତୁମ୍ଭକୁ ବେତନ ଦେବି,” ତହିଁରେ ସେହି ସ୍ତ୍ରୀ ବାଳକକୁ ନେଇ ସ୍ତନ୍ୟପାନ କରାଇଲା। 10ଏଥିଉତ୍ତାରେ ବାଳକ ବଢ଼ନ୍ତେ, ସେ ତାକୁ ନେଇ ଫାରୋଙ୍କର କନ୍ୟାକୁ ଦେଲା। ତହିଁରେ ବାଳକ ତାହାର ପୁତ୍ର ହେଲା। ତେଣୁ ସେ ତାହାର ନାମ ମୋଶା ଦେଲା; “କାରଣ ସେ କହିଲା, ମୁଁ ଜଳରୁ ଏହାକୁ ଆକର୍ଷଣ କଲି।”

ସନ୍ଧ୍ୟା ପ୍ରାର୍ଥନା: ପାଠ

ଆୟୁବ 1:13–22

13ଆଉ, ଦିନେ ତାହାର ପୁତ୍ର ଓ କନ୍ୟାଗଣ ଆପଣାମାନଙ୍କ ଜ୍ୟେଷ୍ଠ ଭ୍ରାତାର ଗୃହରେ ଭୋଜନ ଓ ଦ୍ରାକ୍ଷାରସ ପାନ କରୁଥିଲେ, 14ଏପରି ସମୟରେ ଆୟୁବ ନିକଟକୁ ଏକ ଦୂତ ଆସି କହିଲା, “ବଳଦମାନେ ହଳ ବୁଲାଉଥିଲେ ଓ ସେମାନଙ୍କ ନିକଟରେ ଗର୍ଦ୍ଦଭୀମାନେ ଚରୁଥିଲେ; 15ଏଥିମଧ୍ୟରେ ଶିବାୟୀୟମାନେ ଆକ୍ରମଣ କରି ସେମାନଙ୍କୁ ନେଇଗଲେ; ଆହୁରି, ସେମାନେ ଖଡ୍ଗଧାରରେ ଦାସମାନଙ୍କୁ ବଧ କଲେ; ପୁଣି, ଆପଣଙ୍କୁ ସମ୍ବାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି।” 16ସେ କହିବା ବେଳେ ଆଉ ଜଣେ ମଧ୍ୟ ଆସି କହିଲା, “ଆକାଶରୁ ପରମେଶ୍ୱରଙ୍କ ଅଗ୍ନି ପଡ଼ି ମେଷପଲ ଓ ଦାସମାନଙ୍କୁ ଦଗ୍ଧ କରି ଗ୍ରାସ କରିଅଛି; ପୁଣି, ଆପଣଙ୍କୁ ସମ୍ବାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି।” 17ସେ କହିବା ବେଳେ ଆଉ ଜଣେ ମଧ୍ୟ ଆସି କହିଲା, “କଲ୍‍ଦୀୟମାନେ ତିନି ଦଳ ହୋଇ ଉଷ୍ଟ୍ରପଲ ଆକ୍ରମଣ କରି ସେମାନଙ୍କୁ ନେଇଗଲେ, ଆହୁରି ଖଡ୍ଗଧାରରେ ଦାସମାନଙ୍କୁ ବଧ କଲେ; ପୁଣି ଆପଣଙ୍କୁ ସମ୍ବାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି।” 18ସେ କହିବା ବେଳେ ଆଉ ଜଣେ ମଧ୍ୟ ଆସି କହିଲା, “ଆପଣଙ୍କ ପୁତ୍ର ଓ କନ୍ୟାଗଣ ସେମାନଙ୍କ ଜ୍ୟେଷ୍ଠ ଭ୍ରାତାର ଗୃହରେ ଭୋଜନ ଓ ଦ୍ରାକ୍ଷାରସ ପାନ କରୁଥିଲେ; 19ଏଥିମଧ୍ୟରେ, ଦେଖନ୍ତୁ, ପ୍ରାନ୍ତର ଆଡ଼ୁ ପ୍ରବଳ ବାୟୁ ଆସି ଗୃହର ଚାରି କୋଣରେ ଲାଗନ୍ତେ, ତାହା ଯୁବକମାନଙ୍କ ଉପରେ ପଡ଼ିଲା, ତହିଁରେ ସେମାନେ ମଲେ; ପୁଣି, ଆପଣଙ୍କୁ ସମ୍ବାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି।” 20ସେତେବେଳେ ଆୟୁବ ଉଠି ଆପଣା ବସ୍ତ୍ର ଚିରିଲା ଓ ଆପଣା ମସ୍ତକ କ୍ଷୌର କଲା ଓ ଭୂମିରେ ପଡ଼ି ଉପାସନା କଲା; 21ଆଉ, ସେ କହିଲା, “ମୁଁ ମାତାର ଗର୍ଭରୁ ଉଲଙ୍ଗ ଆସିଅଛି ଓ ମୁଁ ଉଲଙ୍ଗ ହୋଇ ସେଠାକୁ ଫେରିଯିବି; ସଦାପ୍ରଭୁ ଦେଲେ ଓ ସଦାପ୍ରଭୁ ନେଇଅଛନ୍ତି; ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ।” 22ଏହିସବୁରେ ଆୟୁବ ପାପ କଲା ନାହିଁ, ଅବା ପରମେଶ୍ୱରଙ୍କ ଉପରେ ଅବିବେଚନାର ଦୋଷାରୋପ କଲା ନାହିଁ।

ସୁସମାଚାର (ପୂର୍ବ-ପବିତ୍ରୀକୃତ ଦାନର ଉପାସନା)

ମାଥି 24:36–26:2

36“କିନ୍ତୁ ସେହି ଦିନ ଓ ଦଣ୍ଡ ବିଷୟ କେହି ଜାଣନ୍ତି ନାହିଁ, ସ୍ୱର୍ଗର ଦୂତମାନେ କିମ୍ବା ପୁତ୍ର ସୁଦ୍ଧା ଜାଣନ୍ତି ନାହିଁ, କେବଳ ମାତ୍ର ପିତା ଜାଣନ୍ତି। 37ଆଉ ନୋହଙ୍କ ସମୟରେ ଯେପ୍ରକାର ଘଟିଥିଲା, ମନୁଷ୍ୟପୁତ୍ରଙ୍କର ଆଗମନ ସମୟରେ ସେପ୍ରକାର ଘଟିବ। 38କାରଣ ଜଳପ୍ଳାବନର ପୂର୍ବବର୍ତ୍ତୀ ସମୟରେ ଜାହାଜରେ ନୋହଙ୍କର ପ୍ରବେଶ କରିବା ଦିନ ପର୍ଯ୍ୟନ୍ତ ଲୋକେ ଯେପରି ଭୋଜନପାନ ଏବଂ ବିବାହ କରିବା ଓ ବିବାହ ଦେବାରେ ବ୍ୟସ୍ତ ଥିଲେ, 39ପୁଣି, ଜଳପ୍ଳାବନ ଆସି ସମସ୍ତଙ୍କୁ ଭସାଇ ନ ନେବା ପର୍ଯ୍ୟନ୍ତ ଯେପରି ଜାଣି ନ ଥିଲେ, ମନୁଷ୍ୟପୁତ୍ରଙ୍କର ଆଗମନ ମଧ୍ୟ ସେହି ପ୍ରକାର ହେବ। 40ସେତେବେଳେ ଦୁଇ ଜଣ କ୍ଷେତରେ ଥିବେ, ଜଣକୁ ଗ୍ରହଣ କରାଯିବ ଓ ଅନ୍ୟ ଜଣକୁ ପରିତ୍ୟାଗ କରାଯିବ; 41ଦୁଇ ଜଣ ସ୍ତ୍ରୀ ଚକି ପେଷୁଥିବେ, ଜଣକୁ ଗ୍ରହଣ କରାଯିବ ଓ ଅନ୍ୟ ଜଣକୁ ପରିତ୍ୟାଗ କରାଯିବ। 42ଅତଏବ, ଜାଗ୍ରତ ଥାଅ, କାରଣ ତୁମ୍ଭମାନଙ୍କ ପ୍ରଭୁ କେଉଁ ଦିନ ଆସିବେ, ତାହା ତୁମ୍ଭେମାନେ ଜାଣ ନାହିଁ। 43କିନ୍ତୁ ଏହା ଜାଣିଥାଅ, କେଉଁ ପ୍ରହରରେ ଚୋର ଆସିବ, ଏହା ଗୃହକର୍ତ୍ତା ଯଦି ଜାଣନ୍ତେ, ତାହାହେଲେ ସେ ଜାଗ୍ରତ ଥାଇ ଆପଣା ଗୃହରେ ପ୍ରବେଶ କରିବାକୁ ଦିଅନ୍ତେ ନାହିଁ। 44ଏଣୁ ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ହୋଇଥାଅ, କାରଣ ଯେଉଁ ସମୟରେ ତୁମ୍ଭେମାନେ ମନେ କରୁ ନ ଥିବ, ସେହି ସମୟରେ ମନୁଷ୍ୟପୁତ୍ର ଆସିବେ।” 45“ତେବେ ପ୍ରଭୁ ଆପଣା ପରିଜନମାନଙ୍କୁ ଯଥା ସମୟରେ ପ୍ରାପ୍ୟ ଦେବା ନିମନ୍ତେ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କଲେ, ଏପରି ବିଶ୍ୱସ୍ତ ଓ ବୁଦ୍ଧିମାନ ଦାସ କିଏ? 46ପ୍ରଭୁ ଆସି ଆପଣାର ଯେଉଁ ଦାସକୁ ସେପ୍ରକାର କରୁଥିବା ଦେଖିବେ, ସେ ଧନ୍ୟ। 47ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ତାହାକୁ ଆପଣାର ସର୍ବସ୍ୱ ଉପରେ ନିଯୁକ୍ତ କରିବେ। 48କିନ୍ତୁ ଯଦି ସେହି ଦୁଷ୍ଟ ଦାସ ମୋହର ପ୍ରଭୁଙ୍କ ଆସିବାର ବିଳମ୍ବ ଅଛି ବୋଲି ମନେ ମନେ କହି 49ଆପଣା ସହଦାସମାନଙ୍କୁ ପ୍ରହାର କରିବାକୁ ଲାଗେ, ଆଉ ମଦୁଆମାନଙ୍କ ସହିତ ଭୋଜନପାନ କରେ, 50ତାହାହେଲେ ଯେଉଁ ଦିନ ସେ ଅପେକ୍ଷା କରୁ ନ ଥିବ ଓ ଯେଉଁ ସମୟ ସେ ଜାଣି ନ ଥିବ, ସେହି ଦିନ ସେହି ସମୟରେ ତାହାର ପ୍ରଭୁ ଆସିବେ, 51ପୁଣି, ସେ ତାହାକୁ ଦ୍ୱିଖଣ୍ଡ କରି କପଟୀମାନଙ୍କ ସହିତ ତାହାର ଅଂଶ ନିରୂପଣ କରିବେ; ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।” 25:1“ସେତେବେଳେ ସ୍ୱର୍ଗରାଜ୍ୟ ଦଶ ଜଣ କନ୍ୟାଙ୍କ ଭଳି ହେବ; ସେମାନେ ଆପଣା ଆପଣା ପ୍ରଦୀପ ନେଇ ବରଙ୍କ ସହିତ ଭେଟିବାକୁ ବାହାରିଲେ। 2ସେମାନଙ୍କ ମଧ୍ୟରୁ ପାଞ୍ଚ ଜଣ ନିର୍ବୁଦ୍ଧି ଓ ପାଞ୍ଚ ଜଣ ସୁବୁଦ୍ଧି ଥିଲେ। 3ନିର୍ବୁଦ୍ଧିମାନେ ପ୍ରଦୀପ ନେବା ସମୟରେ ନିଜ ନିଜ ସହିତ ତୈଳ ନେଲେ ନାହିଁ, 4ମାତ୍ର ସୁବୁଦ୍ଧିମାନେ ଆପଣା ଆପଣା ପ୍ରଦୀପ ସହିତ ପାତ୍ରରେ ତୈଳ ନେଲେ। 5ବରଙ୍କ ଆସିବାର ବିଳମ୍ବ ହୁଅନ୍ତେ, ସମସ୍ତେ ଢୁଳାଉ ଢୁଳାଉ ଶୋଇ ପଡ଼ିଲେ। 6କିନ୍ତୁ ଅର୍ଦ୍ଧରାତ୍ରରେ ‘ଏହି ଦେଖ, ବର, ତାହାଙ୍କ ସାଙ୍ଗରେ ସାକ୍ଷାତ କରିବାକୁ ବାହାର’, ଏପରି କୋଳାହଳ ହେଲା। 7ସେତେବେଳେ କନ୍ୟାସମସ୍ତେ ଉଠି ଆପଣା ପ୍ରଦୀପ ସଜାଡ଼ିଲେ। 8କିନ୍ତୁ ନିର୍ବୁଦ୍ଧିମାନେ ସୁବୁଦ୍ଧିମାନଙ୍କୁ କହିଲେ, ତୁମ ତୈଳରୁ ଆମକୁ ଅଳ୍ପ ଦିଅ, କାରଣ ଆମ ଦୀପସବୁ ଲିଭିଯାଉଅଛି। 9ମାତ୍ର ସୁବୁଦ୍ଧିମାନେ ଉତ୍ତର ଦେଲେ, ନାହିଁ, ନାହିଁ, ଯଦି ଆମେ ତୁମକୁ ଅଳ୍ପ ଦେବୁ, ତେବେ ତୁମଠାରେ ଓ ଆମଠାରେ ମଧ୍ୟ ଅଣ୍ଟିବ ନାହିଁ, ବରଂ ତୁମେ ଦୋକାନୀମାନଙ୍କ ପାଖକୁ ଯାଇ ଆପଣା ଆପଣା ନିମନ୍ତେ କିଣି ଆଣ। 10କିନ୍ତୁ ସେମାନେ କିଣିବାକୁ ଯାଉଥିବା ସମୟରେ ବର ଆସିଲେ, ପୁଣି, ଯେଉଁମାନେ ପ୍ରସ୍ତୁତ ଥିଲେ, ସେମାନେ ତାହାଙ୍କ ସହିତ ବିବାହ-ଉତ୍ସବରେ ଯୋଗଦାନ କରିବା ନିମନ୍ତେ ଗୃହରେ ପ୍ରବେଶ କଲେ, ଆଉ ଦ୍ୱାର ବନ୍ଦ କରାଗଲା। 11ଏହାପରେ ଅନ୍ୟ କନ୍ୟାମାନେ ମଧ୍ୟ ଆସି କହିଲେ, ହେ ପ୍ରଭୁ, ହେ ପ୍ରଭୁ, ଆମ ପାଇଁ ଦ୍ୱାର ଫିଟାଇ ଦିଅନ୍ତୁ। 12କିନ୍ତୁ ସେ ଉତ୍ତର ଦେଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମୁଁ ତୁମ୍ଭମାନଙ୍କୁ ଜାଣେ ନାହିଁ। 13ଅତଏବ, ଜାଗ୍ରତ ଥାଅ, କାରଣ ତୁମ୍ଭେମାନେ ସେହି ଦିନ କି ସେହି ସମୟ ଜାଣ ନାହିଁ।” 14“ବିଦେଶକୁ ଯାତ୍ରା କରୁଥିବା ଜଣେ ବ୍ୟକ୍ତି ଯେପରି ଆପଣା ଦାସମାନଙ୍କୁ ଡାକି ସେମାନଙ୍କ ହସ୍ତରେ ନିଜର ସର୍ବସ୍ୱ ସମର୍ପଣ କଲେ, ସ୍ୱର୍ଗରାଜ୍ୟ ମଧ୍ୟ ସେହିପରି ଅଟେ। 15ସେ ଜଣକୁ ପାଞ୍ଚ ତୋଡ଼ା, ଅନ୍ୟ ଜଣକୁ ଦୁଇ ତୋଡ଼ା, ଆଉ ଜଣକୁ ଏକ ତୋଡ଼ା, ଏହିପରି ପ୍ରତ୍ୟେକକୁ ତାହାର ଶକ୍ତି ଅନୁସାରେ ଦେଇ ବିଦେଶକୁ ଯାତ୍ରା କଲେ। 16ଯେଉଁ ଜଣକ ପାଞ୍ଚ ତୋଡ଼ା ପାଇଥିଲା, ସେ ସେହିକ୍ଷଣି ତାହା ନେଇ ବ୍ୟବସାୟ କରି ଆଉ ପାଞ୍ଚ ତୋଡ଼ା ଲାଭ କଲା। 17ସେହି ପ୍ରକାରେ ଯେ ଦୁଇଟି ପାଇଥିଲା, ସେ ଆଉ ଦୁଇଟି ଲାଭ କଲା। 18ମାତ୍ର ଯେ ଗୋଟିଏ ପାଇଥିଲା, ସେ ଯାଇ ମାଟି ଖୋଳି ଆପଣା ପ୍ରଭୁଙ୍କ ଟଙ୍କା ପୋତି ଲୁଚାଇ ରଖିଲା। 19ବହୁକାଳ ପରେ ସେହି ଦାସମାନଙ୍କର ପ୍ରଭୁ ଆସି ସେମାନଙ୍କ ସାଙ୍ଗରେ ହିସାବ କଲେ। 20ଆଉ, ଯେଉଁ ଜଣକ ପାଞ୍ଚ ତୋଡ଼ା ପାଇଥିଲା, ସେ ଆଉ ପାଞ୍ଚ ତୋଡ଼ା ନେଇ ଆସି କହିଲା, ହେ ପ୍ରଭୁ, ଆପଣ ମୋତେ ପାଞ୍ଚ ତୋଡ଼ା ଦେଇଥିଲେ; ଦେଖନ୍ତୁ, ମୁଁ ଆଉ ପାଞ୍ଚ ତୋଡ଼ା ଲାଭ କରିଅଛି। 21ତାହାର ପ୍ରଭୁ ତାହାକୁ କହିଲେ, ବେଶ୍, ଉତ୍ତମ ଓ ବିଶ୍ୱସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ୱସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ। 22ପୁଣି, ଯେ ଦୁଇ ତୋଡ଼ା ପାଇଥିଲା, ସେ ମଧ୍ୟ ଆସି କହିଲା, ହେ ପ୍ରଭୁ, ଆପଣ ମୋତେ ଦୁଇ ତୋଡ଼ା ଦେଇଥିଲେ; ଦେଖନ୍ତୁ, ମୁଁ ଆଉ ଦୁଇ ତୋଡ଼ା ଲାଭ କରିଅଛି। 23ତାହାର ପ୍ରଭୁ ତାହାକୁ କହିଲେ, ବେଶ୍, ଉତ୍ତମ ଓ ବିଶ୍ୱସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ୱସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ। 24ଆଉ, ଯେ ଏକ ତୋଡ଼ା ପାଇଥିଲା, ସେ ମଧ୍ୟ ଆସି କହିଲା, ହେ ପ୍ରଭୁ, ଆପଣ ଯେ ଜଣେ କଠିନ ଲୋକ, ଯେଉଁଠାରେ ବୁଣି ନ ଥାଆନ୍ତି, ସେଠାରେ କାଟନ୍ତି, ଆଉ ଯେଉଁଠାରେ ଶସ୍ୟ ବିଛାଇ ନ ଥାନ୍ତି, ସେଠାରେ ସଂଗ୍ରହ କରନ୍ତି, ଏହା ମୁଁ ଜାଣିଥିଲି। 25ଏଣୁ ଭୟ କରି ମୁଁ ଯାଇ ଆପଣଙ୍କ ତୋଡ଼ା ମାଟିରେ ପୋତି ଲୁଚାଇ ରଖିଲି; ଦେଖନ୍ତୁ, ଆପଣ ନିଜର ଧନ ପାଇଲେ। 26କିନ୍ତୁ ତାହାର ପ୍ରଭୁ ତାହାକୁ ଉତ୍ତର ଦେଲେ, ରେ ଦୁଷ୍ଟ ଓ ଅଳସ ଦାସ, ମୁଁ ଯେଉଁଠାରେ ବୁଣି ନ ଥାଏ, ସେଠାରେ କାଟେ, ଆଉ ଯେଉଁଠାରେ ଶସ୍ୟ ଉଡ଼ାଇ ନ ଥାଏ, ସେଠାରେ ସଂଗ୍ରହ କରେ, ଏହା କଅଣ ଜାଣିଥିଲୁ? 27ତେବେ ବଣିକମାନଙ୍କ ହସ୍ତରେ ମୋହର ଟଙ୍କା ରଖିବା ଉଚିତ୍ ଥିଲା; ତାହାହେଲେ ମୁଁ ଆସି ସୁଧ ସହିତ ମୋହର ଧନ ଫେରି ପାଇଥାଆନ୍ତି। 28‘ଅତଏବ, ଏହାଠାରୁ ଏହି ତୋଡ଼ା ନେଇଯାଇ, ଯାହାର ଦଶ ତୋଡ଼ା ଅଛି, ତାହାକୁ ଦିଅ। 29କାରଣ ଯେକୌଣସି ଲୋକର ଅଛି, ତାହାକୁ ଦିଆଯିବ, ଆଉ ତାହାର ପ୍ରଚୁର ହେବ; କିନ୍ତୁ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ହିଁ ତାହାଠାରୁ ନିଆଯିବ। 30ଆଉ, ତୁମ୍ଭେମାନେ ଏହି ଅକର୍ମଣ୍ୟ ଦାସକୁ ବାହାର ଅନ୍ଧକାରରେ ପକାଇଦିଅ, ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।’” 31“ମନୁଷ୍ୟପୁତ୍ର ଯେତେବେଳେ ସମସ୍ତ ଦୂତଙ୍କ ସହିତ ସ୍ୱମହିମାରେ ଆସିବେ, ସେତେବେଳେ ସେ ଆପଣା ଗୌରବମୟ ସିଂହାସନରେ ବସିବେ, 32ପୁଣି, ତାହାଙ୍କ ଛାମୁରେ ସମସ୍ତ ଜାତି ଏକତ୍ର କରାଯିବେ, ଆଉ ମେଷପାଳକ ଛାଗଠାରୁ ମେଷ ପୃଥକ୍ କରି, 33ମେଷମାନଙ୍କୁ ଆପଣା ଦକ୍ଷିଣ ପାର୍ଶ୍ୱରେ ଓ ଛାଗମାନଙ୍କୁ ବାମ ପାର୍ଶ୍ୱରେ ରଖିବେ। 34ସେତେବେଳେ ରାଜା ଆପଣା ଦକ୍ଷିଣ ପାର୍ଶ୍ୱସ୍ଥ ଲୋକଙ୍କୁ କହିବେ, ଆସ, ମୋହର ପିତାଙ୍କ ଆଶୀର୍ବାଦପାତ୍ରମାନେ, ତୁମ୍ଭମାନଙ୍କ ନିମନ୍ତେ ଜଗତର ପତ୍ତନାବଧି ଯେଉଁ ରାଜ୍ୟ ପ୍ରସ୍ତୁତ କରାଯାଇଅଛି, ସେଥିରେ ଅଧିକାରୀ ହୁଅ; 35କାରଣ ମୁଁ କ୍ଷୁଧିତ ଥିଲି, ତୁମ୍ଭେମାନେ ମୋତେ ଭୋଜନ କରିବାକୁ ଦେଲ; ତୃଷିତ ଥିଲି, ମୋତେ ପାନ କରିବାକୁ ଦେଲ; ପ୍ରବାସୀ ଥିଲି, ମୋତେ ଅାଶ୍ରୟ ଦେଲ; 36ଉଲଗ୍ନ ଥିଲି, ମୋତେ ବସ୍ତ୍ର ପରିଧାନ କରାଇଲ; ଅସୁସ୍ଥ ଥିଲି, ମୋତେ ଦେଖି ଆସିଲ; କାରାଗାରରେ ଥିଲି; ମୋ ନିକଟକୁ ଆସିଲ। 37ସେଥିରେ ଧାର୍ମିକମାନେ ତାହାଙ୍କୁ ଉତ୍ତର ଦେବେ, ହେ ପ୍ରଭୁ, କେବେ ଆମ୍ଭେମାନେ ଆପଣଙ୍କୁ କ୍ଷୁଧିତ ଦେଖି ଆହାର ଦେଲୁ? ଅବା ତୃଷିତ ଦେଖି ପାନ କରିବାକୁ ଦେଲୁ? 38ଆଉ, କେବେ ଆପଣଙ୍କୁ ପ୍ରବାସୀ ଦେଖି ଆଶ୍ରୟ ଦେଲୁ? କିମ୍ବା ଉଲଗ୍ନ ଦେଖି ବସ୍ତ୍ର ପରିଧାନ କରାଇଲୁ? 39ଆଉ, କେବେ ଆପଣଙ୍କୁ ଅସୁସ୍ଥ ଅବା କାରାଗାରସ୍ଥ ଦେଖି ଆପଣଙ୍କ ନିକଟକୁ ଗଲୁ? 40ପୁଣି, ରାଜା ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ମୋହର ଏହି କ୍ଷୁଦ୍ରତମ ଭ୍ରାତୃବୃନ୍ଦଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରିଥିବାରୁ ମୋ ପ୍ରତି ହିଁ ତାହା କରିଅଛ। 41ତାହା ପରେ ସେ ବାମ ପାର୍ଶ୍ୱସ୍ଥ ଲୋକଙ୍କୁ ମଧ୍ୟ କହିବେ, ରେ ଶାପଗ୍ରସ୍ତମାନେ, ମୋ ସମ୍ମୁଖରୁ ଦୂର ହୋଇ ଶୟତାନ ଓ ତାହାର ଦୂତମାନଙ୍କ ନିମନ୍ତେ ପ୍ରସ୍ତୁତ କରାଯାଇଥିବା ଅନନ୍ତ ଅଗ୍ନି ମଧ୍ୟକୁ ଚାଲିଯାଅ, 42କାରଣ ମୁଁ କ୍ଷୁଧିତ ଥିଲି, ତୁମ୍ଭେମାନେ ମୋତେ ଭୋଜନ କରିବାକୁ ଦେଲ ନାହିଁ; ତୃଷିତ ଥିଲି, ମୋତେ ପାନ କରିବାକୁ ଦେଲ ନାହିଁ; 43ପ୍ରବାସୀ ଥିଲି, ମୋତେ ଆଶ୍ରୟ ଦେଲ ନାହିଁ; ଉଲଗ୍ନ ଥିଲି, ମୋତେ ବସ୍ତ୍ର ପରିଧାନ କରାଇଲ ନାହିଁ; ଅସୁସ୍ଥ ଓ କାରାଗାରସ୍ଥ ଥିଲି, ମୋତେ ଦେଖିବାକୁ ଆସିଲ ନାହିଁ। 44ସେଥିରେ ସେମାନେ ମଧ୍ୟ ଉତ୍ତର ଦେବେ, ହେ ପ୍ରଭୁ, କେବେ ଆମ୍ଭେମାନେ ଆପଣଙ୍କୁ କ୍ଷୁଧିତ କି ତୃଷିତ, ପ୍ରବାସୀ କି ଉଲଗ୍ନ, ପୀଡ଼ିତ କି କାରାଗାରସ୍ଥ ଦେଖି ଆପଣଙ୍କର ସେବା କଲୁ ନାହିଁ? 45ସେଥିରେ ସେ ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରି ନ ଥିବାରୁ ମୋ ପ୍ରତି ହିଁ ତାହା କରି ନାହଁ। 46ଆଉ, ଏମାନେ ଅନନ୍ତ ଶାସ୍ତି, କିନ୍ତୁ ଧାର୍ମିକମାନେ ଅନନ୍ତ ଜୀବନ ଭୋଗ କରିବାକୁ ଯିବେ।” 26:1ଯୀଶୁ ଏହି ସମସ୍ତ କଥା ଶେଷ କରି ଆପଣା ଶିଷ୍ୟମାନଙ୍କୁ କହିଲେ, 2“ଦୁଇ ଦିନ ପରେ ଯେ ନିସ୍ତାର ପର୍ବ ହେବ, ଏହା ତୁମ୍ଭେମାନେ ଜାଣ, ପୁଣି, ମନୁଷ୍ୟପୁତ୍ର କ୍ରୁଶରେ ହତ ହେବା ନିମନ୍ତେ ସମର୍ପିତ ହେବେ।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅପ୍ରେଲ 14 ନାଗରିକ ପଞ୍ଜିକାର ଅପ୍ରେଲ 27। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର