Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମଇ 2027 › ମଇ 2

ଅର୍ଥୋଡକ୍ସ ପଞ୍ଜିକା · 19 ଅପ୍ରେଲ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 2 ମଇ 2027

ରବିବାର · ସ୍ୱର 1

ପର୍ବ ଓ ସନ୍ଥ

ପବିତ୍ର ପାସ୍କା

ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ

ଉପବାସମୁକ୍ତ ସପ୍ତାହ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ପ୍ରେରି 1:1–8

1ହେ ଥୀୟଫିଲ, ଯେଉଁ ଦିନ ଯୀଶୁ ଆପଣା ମନୋନୀତ ପ୍ରେରିତମାନଙ୍କୁ ପବିତ୍ର ଆତ୍ମାଙ୍କ ଦ୍ୱାରା ଆଜ୍ଞା ଦେଇ ଊର୍ଦ୍ଧ୍ୱକୁ ନିଆଗଲେ, 2ସେହି ଦିନ ପର୍ଯ୍ୟନ୍ତ ସେ ଯେଉଁ ସବୁ କାର୍ଯ୍ୟ କରିବାକୁ ଓ ଶିକ୍ଷା ଦେବାକୁ ଆରମ୍ଭ କରିଥିଲେ, ସେହି ସମସ୍ତ ବିଷୟଗୁଡ଼ିକୁ ମୁଁ ପ୍ରଥମ ପୁସ୍ତକରେ ଲେଖିଅଛି। 3ଯୀଶୁ ଆପଣା ଦୁଃଖଭୋଗ ଉତ୍ତାରେ ମଧ୍ୟ ଅନେକ ପ୍ରମାଣ ଦ୍ୱାରା ପ୍ରେରିତମାନଙ୍କ ନିକଟରେ ନିଜକୁ ଜୀବିତ ଦେଖାଇଲେ, ପୁଣି, ଚାଳିଶ ଦିନ ପର୍ଯ୍ୟନ୍ତ ବାରମ୍ବାର ସେମାନଙ୍କୁ ଦର୍ଶନ ଦେଇ ଈଶ୍ବରଙ୍କ ରାଜ୍ୟ ସମ୍ବନ୍ଧୀୟ ବିଷୟଗୁଡ଼ିକ କହିଲେ। 4ଥରେ ସେମାନଙ୍କ ସହିତ ଭୋଜନରେ ବସିବା ସମୟରେ ସେ ସେମାନଙ୍କୁ ଏହି ଆଜ୍ଞା ଦେଲେ, “ତୁମ୍ଭେମାନେ ଯିରୂଶାଲମ ସହରରୁ ପ୍ରସ୍ଥାନ କର ନାହିଁ, କିନ୍ତୁ ପିତାଙ୍କର ଯେଉଁ ପ୍ରତିଜ୍ଞା ବିଷୟ ମୋʼଠାରୁ ଶୁଣିଅଛ, ସେଥିର ଅପେକ୍ଷାରେ ରହିଥାଅ; 5କାରଣ ଯୋହନ ଜଳରେ ବାପ୍ତିସ୍ମ ଦେଲେ ସତ, କିନ୍ତୁ ତୁମ୍ଭେମାନେ ଅଳ୍ପ ଦିନ ମଧ୍ୟରେ ପବିତ୍ର ଆତ୍ମାରେ ବାପ୍ତିଜିତ ହେବ।” 6ଅତଏବ, ସେମାନେ ଏକତ୍ର ହୋଇ ତାହାଙ୍କୁ ପଚାରିବାକୁ ଲାଗିଲେ; “ହେ ପ୍ରଭୁ, ଆପଣ କଣ ଏହି ସମୟରେ ଇସ୍ରାଏଲ ହସ୍ତରେ ପୁନର୍ବାର ରାଜ୍ୟଭାର ସମର୍ପଣ କରୁଅଛନ୍ତି?” 7ସେ ସେମାନଙ୍କୁ କହିଲେ, “ଯେଉଁ ସମସ୍ତ କାଳ କି ସମୟ ପିତା ଆପଣା କ୍ଷମତା ଅଧୀନରେ ରଖିଅଛନ୍ତି, ତାହା ତୁମ୍ଭମାନଙ୍କ ଜାଣିବା ବିଷୟ ନୁହେଁ। 8କିନ୍ତୁ ପବିତ୍ର ଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହୁଅନ୍ତେ, ତୁମ୍ଭେମାନେ ଶକ୍ତି ପ୍ରାପ୍ତ ହେବ, ଆଉ ଯିରୂଶାଲମ, ସମସ୍ତ ଯିହୂଦିୟା ପ୍ରଦେଶ ଓ ଶମିରୋଣ, ପୁଣି, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ସୁଦ୍ଧା ମୋହର ସାକ୍ଷୀ ହେବ।”

ସୁସମାଚାର

ଯୋହ 1:1–17

1ସୃଷ୍ଟିର ପୂର୍ବରୁ ବାକ୍ୟ ଥିଲେ, ବାକ୍ୟ ଈଶ୍ବରଙ୍କ ସଙ୍ଗରେ ଥିଲେ, ସେହି ବାକ୍ୟ ଈଶ୍ବର ଥିଲେ। 2ସେ ଆଦ୍ୟରେ ଈଶ୍ବରଙ୍କ ସହିତ ଥିଲେ। 3ତାହାଙ୍କ ଦ୍ୱାରା ସମସ୍ତ ସୃଷ୍ଟ ହେଲା; ଆଉ ଯେ ସମସ୍ତ ସୃଷ୍ଟ ହୋଇଅଛି, ସେଥିମଧ୍ୟରୁ ଗୋଟିଏ ସୁଦ୍ଧା ତାହାଙ୍କ ବିନା ସୃଷ୍ଟ ହୋଇ ନାହିଁ। 4ତାହାଙ୍କଠାରେ ଜୀବନ ଥିଲା ଓ ସେହି ଜୀବନ ମନୁଷ୍ୟମାନଙ୍କର ଜ୍ୟୋତିଃ। 5ସେହି ଜ୍ୟୋତିଃ ଅନ୍ଧକାରରେ ଜାଜ୍ୱଲ୍ୟମାନ ହୋଇ ଆସୁଅଛି, ଆଉ ଅନ୍ଧକାର ତାହା ଗ୍ରହଣ କରି ନାହିଁ। 6ଈଶ୍ବରଙ୍କ ନିକଟରୁ ପ୍ରେରିତ ଜଣେ ବ୍ୟକ୍ତି ଉପସ୍ଥିତ ହେଲେ; ତାହାଙ୍କ ନାମ ଯୋହନ। 7ସେ ଯେପରି ଜ୍ୟୋତିଃ ବିଷୟରେ ସାକ୍ଷ୍ୟ ଦିଅନ୍ତି, ପୁଣି, ତାହାଙ୍କ ଦ୍ୱାରା ସମସ୍ତେ ବିଶ୍ୱାସ କରନ୍ତି, ଏଥିପାଇଁ ସେ ସାକ୍ଷ୍ୟ ଦେବା ନିମନ୍ତେ ଆସିଲେ। 8ସେ ନିଜେ ସେହି ଜ୍ୟୋତିଃ ନ ଥିଲେ, କିନ୍ତୁ ଜ୍ୟୋତିଃ ବିଷୟରେ ସାକ୍ଷ୍ୟ ଦେବା ନିମନ୍ତେ ଆସିଲେ। 9ଯେଉଁ ସତ୍ୟ ଜ୍ୟୋତିଃ ପ୍ରତ୍ୟେକ ମନୁଷ୍ୟକୁ ଆଲୋକ ପ୍ରଦାନ କରନ୍ତି, ସେ ଜଗତକୁ ଆସୁଥିଲେ। 10ସେ ଜଗତରେ ଥିଲେ ଓ ଜଗତ ତାହାଙ୍କ ଦ୍ୱାରା ସୃଷ୍ଟ ହେଲା, ତଥାପି ଜଗତ ତାହାଙ୍କୁ ଚିହ୍ନିଲା ନାହିଁ। 11ସେ ଆପଣା ରାଜ୍ୟକୁ ଆସିଲେ, ତଥାପି ତାହାଙ୍କର ନିଜ ଲୋକମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ। 12ମାତ୍ର ଯେତେ ଲୋକ ତାହାଙ୍କୁ ଗ୍ରହଣ କଲେ, ଅର୍ଥାତ୍‍, ଯେଉଁମାନେ ତାହାଙ୍କ ନାମରେ ବିଶ୍ୱାସ କଲେ, ସେ ସମସ୍ତଙ୍କୁ ସେ ଈଶ୍ବରଙ୍କ ସନ୍ତାନ ହେବା ନିମନ୍ତେ ଅଧିକାର ଦେଲେ; 13ସେମାନେ ରକ୍ତରୁ, ଶରୀରର ଇଚ୍ଛାରୁ ଅବା ମନୁଷ୍ୟର ଇଚ୍ଛାରୁ ଜାତ ହେଲେ ନାହିଁ, ବରଂ ଈଶ୍ବରଙ୍କଠାରୁ ଜାତ ହେଲେ। 14ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ। 15ଯୋହନ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେଇ ଉଚ୍ଚସ୍ୱରରେ କହିଲେ, ଯେ ମୋʼ ଉତ୍ତାରେ ଆସୁଅଛନ୍ତି, ସେ ମୋହର ଅଗ୍ରଗଣ୍ୟ ହୋଇଅଛନ୍ତି, କାରଣ ସେ ମୋହର ପୂର୍ବରେ ଥିଲେ, ଯାହାଙ୍କ ବିଷୟରେ ମୁଁ ଏହା କହିଥିଲି, ସେ ଏହି। 16ଏଣୁ ତାହାଙ୍କ ପୂର୍ଣ୍ଣତାରୁ ଆମ୍ଭେମାନେ ସମସ୍ତେ ପ୍ରାପ୍ତ ହୋଇଅଛୁ, ହଁ, ଅନୁଗ୍ରହ ଉପରେ ଅନୁଗ୍ରହପ୍ରାପ୍ତ ହୋଇଅଛୁ। 17କାରଣ ବ୍ୟବସ୍ଥା ମୋଶାଙ୍କ ଦ୍ୱାରା ପ୍ରଦତ୍ତ ହେଲା, କିନ୍ତୁ ଅନୁଗ୍ରହ ଓ ସତ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଉପସ୍ଥିତ ହେଲା।

ସନ୍ଧ୍ୟା ପ୍ରାର୍ଥନା: ସୁସମାଚାର

ଯୋହ 20:19–25

19ସେହି ଦିନ, ଅର୍ଥାତ୍‍, ସପ୍ତାହର ପ୍ରଥମ ଦିନ ସନ୍ଧ୍ୟା ସମୟରେ ଯେତେବେଳେ ଶିଷ୍ୟମାନେ ଯେଉଁ ଗୃହରେ ଥିଲେ, ସେଥିର ଦ୍ୱାରଗୁଡ଼ିକ ଯିହୁଦୀମାନଙ୍କ ଭୟରେ ରୁଦ୍ଧ ଥିଲା, ସେତେବେଳେ ଯୀଶୁ ଆସି ମଧ୍ୟସ୍ଥଳରେ ଠିଆ ହୋଇ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ।” 20ପୁଣି, ଏହା କହି ସେ ସେମାନଙ୍କୁ ଆପଣା ହସ୍ତ ଓ କକ୍ଷଦେଶ ଦେଖାଇଲେ। ସେଥିରେ ଶିଷ୍ୟମାନେ ପ୍ରଭୁଙ୍କୁ ଦେଖି ଆନନ୍ଦିତ ହେଲେ। 21ଯୀଶୁ ସେମାନଙ୍କୁ ପୁନର୍ବାର କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ; ପିତା ଯେପ୍ରକାରେ ମୋତେ ପ୍ରେରଣ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାରେ ତୁମ୍ଭମାନଙ୍କୁ ପ୍ରେରଣ କରୁଅଛି।” 22ସେ ଏହା କହି ସେମାନଙ୍କ ଉପରେ ପ୍ରଶ୍ୱାସ ଛାଡ଼ି ସେମାନଙ୍କୁ କହିଲେ, “ପବିତ୍ର ଆତ୍ମାଙ୍କୁ ଗ୍ରହଣ କର। 23ତୁମ୍ଭେମାନେ ଯଦି କାହାରି ପାପ କ୍ଷମା କରିବ, ତାହାର ପାପ କ୍ଷମା ହେବ; ପୁଣି, ଯଦି କାହାରି ପାପ କ୍ଷମା ନ କରିବ, ତାହାର ପାପ କ୍ଷମା ହେବ ନାହିଁ।” 24କିନ୍ତୁ ଯୀଶୁ ଯେତେବେଳେ ଆସିଥିଲେ, ସେତେବେଳେ ଦ୍ୱାଦଶଙ୍କ ମଧ୍ୟରୁ ଥୋମା ନାମକ ଜଣେ, ଯାହାଙ୍କୁ ଦିଦୁମ କହନ୍ତି, ସେ ସେମାନଙ୍କ ସାଙ୍ଗରେ ନ ଥିଲେ। 25ଅତଏବ, ଅନ୍ୟ ଶିଷ୍ୟମାନେ ତାହାଙ୍କୁ କହିଲେ, ଆମ୍ଭେମାନେ ପ୍ରଭୁଙ୍କୁ ଦେଖିଅଛୁ। କିନ୍ତୁ ସେ ସେମାନଙ୍କୁ କହିଲେ, ତାହାଙ୍କ ହାତରେ କଣ୍ଟାର ଚିହ୍ନସବୁ ନ ଦେଖିଲେ ଓ ସେହିସବୁ ସ୍ଥାନରେ ମୋହର ଅଙ୍ଗୁଳି ନ ଦେଲେ ଏବଂ ତାହାଙ୍କ କକ୍ଷଦେଶରେ ମୋହର ହାତ ନ ଦେଲେ ମୁଁ କଦାପି ବିଶ୍ୱାସ କରିବି ନାହିଁ।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅପ୍ରେଲ 19 ନାଗରିକ ପଞ୍ଜିକାର ମଇ 2। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର