Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମଇ 2027 › ମଇ 3

ଅର୍ଥୋଡକ୍ସ ପଞ୍ଜିକା · 20 ଅପ୍ରେଲ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 3 ମଇ 2027

ସୋମବାର · ଉଜ୍ଜ୍ୱଳ ସପ୍ତାହ · ସ୍ୱର 2

ପର୍ବ ଓ ସନ୍ଥ

ଉଜ୍ଜ୍ୱଳ ସପ୍ତାହର ସୋମବାର

ଉପବାସମୁକ୍ତ ସପ୍ତାହ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ପ୍ରେରି 1:12–17, 21–26

12ଏହାପରେ ସେମାନେ ଜୀତ ନାମକ ପର୍ବତରୁ ଯିରୂଶାଲମ ସହରକୁ ବାହୁଡ଼ି ଆସିଲେ। ସେହି ପର୍ବତ ଯିରୂଶାଲମ ପାଖରେ, ଗୋଟିଏ ବିଶ୍ରାମବାରର ବାଟ ଦୂରରେ ଥିଲା। 13ସେମାନେ, ଅର୍ଥାତ୍‍ ପିତର, ଯୋହନ, ଯାକୁବ, ଆନ୍ଦ୍ରିୟ, ଫିଲିପ୍ପ, ଥୋମା, ବାର୍ଥଲମୀ, ମାଥିଉ, ଆଲଫିଙ୍କ ପୁତ୍ର ଯାକୁବ, ଉଦ୍‌ଯୋଗୀ ଶିମୋନ ଓ ଯାକୁବଙ୍କ ପୁତ୍ର ଯିହୂଦା, ନଗରରେ ପ୍ରବେଶ କରି, ଯେଉଁ ଉପର କୋଠରୀରେ ସେମାନେ ବାସ କରୁଥିଲେ, ସେଠାକୁ ଗଲେ। 14ଏମାନେ ସମସ୍ତେ ସ୍ତ୍ରୀଲୋକମାନଙ୍କ ସହିତ ଏବଂ ଯୀଶୁଙ୍କ ମାତା ମରୀୟମ ଓ ତାହାଙ୍କ ଭାଇମାନଙ୍କ ସହିତ ଏକ ମନରେ ପ୍ରାର୍ଥନାରେ ଲାଗି ରହିଲେ। 15ସେହି ସମୟରେ ପିତର ଭାଇମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ; (ସେଠାରେ ଯୀଶୁଙ୍କର ଅନୁଗତ ପ୍ରାୟ ଶହେ କୋଡ଼ିଏ ଜଣ ଥିଲେ), 16ମୋହର ଭାଇମାନେ, ଯେଉଁ ଯିହୂଦା ଯୀଶୁଙ୍କୁ ଧରିବା ଲୋକମାନଙ୍କୁ ବାଟ ଦେଖାଇଥିଲା, ତାହା ବିଷୟରେ ପବିତ୍ର ଆତ୍ମା ପୂର୍ବରୁ ଦାଉଦଙ୍କ ମୁଖରେ ଯାହା କହିଥିଲେ, ସେହି ଶାସ୍ତ୍ରୀୟ ବାକ୍ୟ ସଫଳ ହେବା ଆବଶ୍ୟକ ଥିଲା; 17କାରଣ ସେ ଆମ୍ଭମାନଙ୍କ ମଧ୍ୟରେ ଜଣେ ବୋଲି ଗଣାଯାଇଥିଲା ଓ ଏହି ସେବାପଦରେ ଅଂଶ ପ୍ରାପ୍ତ ହୋଇଥିଲା। 21ଅତଏବ, ପ୍ରଭୁ ଯୀଶୁ ଯୋହନଙ୍କ ଦ୍ୱାରା ବାପ୍ତିସ୍ମ ନେବା ସମୟଠାରୁ ଆରମ୍ଭ କରି, ଆମ୍ଭମାନଙ୍କ ନିକଟରୁ ଊର୍ଦ୍ଧ୍ୱକୁ ନିଆଯିବା ଦିନ ପର୍ଯ୍ୟନ୍ତ ଯେତେ ସମୟ ଆମ୍ଭମାନଙ୍କ ମଧ୍ୟରେ ଗମନାଗମନ କରୁଥିଲେ, 22ସେହି ସମୟରେ ଯେଉଁ ଲୋକମାନେ ଆମ୍ଭମାନଙ୍କ ସଙ୍ଗୀ ହୋଇଅଛନ୍ତି, ସେମାନଙ୍କ ମଧ୍ୟରୁ ଜଣେ ଆମ୍ଭମାନଙ୍କ ସହିତ ତାହାଙ୍କ ପୁନରୁତ୍ଥାନର ସାକ୍ଷୀ ହେବା ଆବଶ୍ୟକ।” 23ସେଥିରେ ସେମାନେ ଦୁଇ ଜଣଙ୍କୁ, ଅର୍ଥାତ୍‍ ଯୋଷେଫଙ୍କୁ, ଯାହାକୁ ବର୍ଶବ୍ବା ବୋଲି କହନ୍ତି ଓ ଯାହାଙ୍କ ଉପନାମ ଯୂସ୍ତ, ତାହାଙ୍କୁ ଓ ମଥିୟଙ୍କୁ ପୃଥକ୍ କରି ଏହି ପ୍ରାର୍ଥନା କଲେ, 24“ହେ ସର୍ବାନ୍ତର୍ଯ୍ୟାମୀ ପ୍ରଭୁ, ଯିହୂଦା ନିଜ ଉପଯୁକ୍ତ ସ୍ଥାନକୁ ଯିବା ନିମନ୍ତେ ଏହି ଯେଉଁ ସେବା ଓ ପ୍ରେରିତ ପଦରୁ ପତିତ ହୋଇଅଛି, 25ସେହି ପ୍ରେରିତପଦ ଗ୍ରହଣ କରିବା ପାଇଁ ଏହି ଦୁଇ ଜଣଙ୍କ ମଧ୍ୟରୁ ତୁମ୍ଭେ କାହାକୁ ମନୋନୀତ କରିଅଛ, ତାହା ଦେଖାଇଦିଅ।” 26ଆଉ, ସେମାନେ ସେହି ଦୁଇ ଜଣଙ୍କ ନିମନ୍ତେ ଗୁଲିବାଣ୍ଟ କଲେ, ପୁଣି, ମଥିୟଙ୍କ ନାମରେ ଗୁଲି ଉଠିଲା; ସେଥିରେ ସେ ଏଗାର ଜଣ ପ୍ରେରିତଙ୍କ ସହିତ ଗଣିତ ହେଲେ।

ସୁସମାଚାର

ଯୋହ 1:18–28

18କେହି କେବେ ଈଶ୍ବରଙ୍କୁ ଦେଖି ନାହିଁ, ପିତାଙ୍କ କୋଳସ୍ଥିତ ଅଦ୍ୱିତୀୟ ପୁତ୍ର ତାହାଙ୍କୁ ପ୍ରକାଶ କଲେ। 19ଆପଣ କିଏ, ଏହା ଯୋହନଙ୍କୁ ପଚାରିବା ନିମନ୍ତେ ଯିହୁଦୀ ନେତାମାନେ ଯେତେବେଳେ ଯିରୂଶାଲମ ସହରରୁ ଯାଜକ ଓ ଲେବୀୟମାନଙ୍କୁ ତାହାଙ୍କ ନିକଟକୁ ପଠାଇଲେ, ସେତେବେଳେ ସେ ଏହି ସାକ୍ଷ୍ୟ ଦେଲେ, 20ସେ ସ୍ୱୀକାର କଲେ, ଅସ୍ୱୀକାର କଲେ ନାହିଁ; ସେ ସ୍ୱୀକାର କଲେ, ମୁଁ ଖ୍ରୀଷ୍ଟ ନୁହେଁ। 21ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତେବେ କଅଣ? ଆପଣ କଅଣ ଏଲୀୟ? ସେ କହିଲେ, ମୁଁ ନୁହେଁ। ଆପଣ କଅଣ ସେହି ଭାବବାଦୀ? ସେ ଉତ୍ତର ଦେଲେ, ନା। 22ସେଥିରେ ସେମାନେ ତାହାଙ୍କୁ କହିଲେ, ଆମ୍ଭମାନଙ୍କୁ ପଠାଇଥିବା ଲୋକଙ୍କୁ ଯେପରି ଉତ୍ତର ଦେଇପାରୁ, ଏଥିସକାଶେ ଆପଣ କିଏ? ଆପଣ ନିଜ ବିଷୟରେ କଅଣ କହୁଅଛନ୍ତି? 23ସେ କହିଲେ, “ଯିଶାଇୟ ଭାବବାଦୀ ଯେପରି କହିଥିଲେ, ‘ମୁଁ ସେହି ପ୍ରକାର ମରୁପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ସଳଖ କର।’” 24ପୁଣି, ଫାରୂଶୀମାନଙ୍କ ମଧ୍ୟରୁ କେତେକ ଜଣ ପ୍ରେରିତ ହୋଇଥିଲେ। 25ସେମାନେ ତାହାଙ୍କୁ ପଚାରିଲେ, ଆପଣ ଯଦି ଖ୍ରୀଷ୍ଟ ବା ଏଲୀୟ ବା ସେହି ଭାବବାଦୀ ନୁହଁନ୍ତି, ତାହାହେଲେ କାହିଁକି ବାପ୍ତିସ୍ମ ଦେଉଅଛନ୍ତି? 26ଯୋହନ ସେମାନଙ୍କୁ ଉତ୍ତର ଦେଲେ, ମୁଁ ଜଳରେ ବାପ୍ତିସ୍ମ ଦେଉଅଛି; ଯାହାଙ୍କୁ ତୁମ୍ଭେମାନେ ଜାଣ ନାହିଁ, ସେ ତୁମ୍ଭମାନଙ୍କ ମଧ୍ୟରେ ବିଦ୍ୟମାନ; 27ସେ ମୋʼ ଉତ୍ତାରେ ଆସୁଅଛନ୍ତି, ତାହାଙ୍କ ପାଦୁକାର ବନ୍ଧନ ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ। 28ଯର୍ଦ୍ଦନ ନଦୀର ପରପାରସ୍ଥ ଯେଉଁ ବେଥନୀୟାରେ ଯୋହନ ବାପ୍ତିସ୍ମ ଦେଉଥିଲେ, ସେହି ସ୍ଥାନରେ ଏହିସବୁ ଘଟିଲା।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅପ୍ରେଲ 20 ନାଗରିକ ପଞ୍ଜିକାର ମଇ 3। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର