ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମଇ 2027 › ମଇ 5
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 5 ମଇ 2027
ବୁଧବାର · ପାସ୍କା କାଳର ଷଷ୍ଠ ସପ୍ତାହ
ପର୍ବ ଓ ସନ୍ଥ
ପାସ୍କା କାଳର ଷଷ୍ଠ ସପ୍ତାହର ବୁଧବାର
ସାଧାରଣ ଦିନ · ଉପାସନାର ରଙ୍ଗ: ଧଳା
ଦିନର ପାଠ
ପ୍ରଥମ ପାଠ
15କିନ୍ତୁ ଯେଉଁମାନେ ପାଉଲଙ୍କୁ ସାଙ୍ଗରେ ଘେନିଗଲେ, ସେମାନେ ତାହାଙ୍କୁ ଆଥିନୀ ପର୍ଯ୍ୟନ୍ତ ଆଣିଲେ, ଆଉ ଶୀଲା ଓ ତୀମଥି ଯେପରି ଅତି ଶୀଘ୍ର ତାହାଙ୍କ ନିକଟକୁ ଆସନ୍ତି, ଏହି ଆଜ୍ଞା ପାଇ ସେମାନେ ପ୍ରସ୍ଥାନ କଲେ। 22ଏଥିରେ ପାଉଲ ଆରିୟପାଗର ମଧ୍ୟସ୍ଥଳରେ ଠିଆ ହୋଇ କହିଲେ, ହେ ଆଥିନୀ ସହରର ଲୋକମାନେ, ଆପଣମାନେ ଯେ ସମସ୍ତ ବିଷୟରେ ବଡ଼ ଦେବ ଭକ୍ତ, ଏହା ମୁଁ ଦେଖୁଅଛି। 23କାରଣ ମୁଁ ଭ୍ରମଣ କରିବା ସମୟରେ ଆପଣମାନଙ୍କର ପୂଜିତ ବସ୍ତୁସମସ୍ତ ଦେଖୁ ଦେଖୁ ଗୋଟିଏ ବେଦି ମଧ୍ୟ ଦେଖିଲି, ଯାହା ଉପରେ ଏହି କଥା ଲେଖା ହୋଇଅଛି, “ଅଜ୍ଞାତ ଦେବତାଙ୍କ ଉଦ୍ଦେଶ୍ୟରେ।” ଅତଏବ, ଆପଣମାନେ ନ ଜାଣି ଯାହାଙ୍କର ପୂଜା କରୁଅଛନ୍ତି, ମୁଁ ତାହାଙ୍କୁ ଆପଣମାନଙ୍କ ନିକଟରେ ପ୍ରଚାର କରୁଅଛି। 24ଯେଉଁ ଈଶ୍ବର ଜଗତ ଓ ତନ୍ମଧ୍ୟସ୍ଥ ସମସ୍ତ ପଦାର୍ଥ ସୃଷ୍ଟି କରିଅଛନ୍ତି, ସେ ସ୍ୱର୍ଗ ଓ ପୃଥିବୀର ପ୍ରଭୁ ହେବାରୁ ହସ୍ତନିର୍ମିତ ମନ୍ଦିର-ସମୂହରେ ବାସ କରନ୍ତି ନାହିଁ, 25କିଅବା ତାହାଙ୍କର କୌଣସି ଅଭାବ ଥିବାରୁ ମନୁଷ୍ୟହସ୍ତ ଦ୍ୱାରା ସେବିତ ହୁଅନ୍ତି ନାହିଁ, ଯେଣୁ ସେ ସ୍ୱୟଂ ସମସ୍ତଙ୍କୁ ଜୀବନ, ନିଶ୍ୱାସ, ଓ ସମସ୍ତ ପଦାର୍ଥ ଦାନ କରନ୍ତି। 26ଆଉ, ସେ ପୃଥିବୀର ସର୍ବତ୍ର ବାସ କରିବା ନିମନ୍ତେ ଏକ ବ୍ୟକ୍ତିଠାରୁ ସମସ୍ତ ମାନବଜାତି ସୃଷ୍ଟି କରିଅଛନ୍ତି; ସେ ସେମାନଙ୍କର ନିର୍ଦ୍ଦିଷ୍ଟ କାଳ ଓ ନିବାସର ସୀମା ସ୍ଥିର କରିଅଛନ୍ତି, 27ସେମାନେ ଯେପରି ଈଶ୍ବରଙ୍କର ଅନ୍ୱେଷଣ କରି କାଳେ ଦରାଣ୍ଡି ଦରାଣ୍ଡି ତାହାଙ୍କର ଉଦ୍ଦେଶ୍ୟ ପାଇ ପାରନ୍ତି, ଯଦ୍ୟପି ସେ ଆମ୍ଭମାନଙ୍କର କାହାରିଠାରୁ ଦୂରରେ ନାହାନ୍ତି। 28କାରଣ ତାହାଙ୍କଠାରେ ଆମ୍ଭମାନଙ୍କର ଅସ୍ତି, ଗତି ଓ ସ୍ଥିତି, ଯେପରି ଆପଣମାନଙ୍କର ନିଜ କବିମାନଙ୍କ ମଧ୍ୟରୁ ସୁଦ୍ଧା କେତେକ କହିଅଛନ୍ତି, “କାରଣ ଆମ୍ଭେମାନେ ମଧ୍ୟ ତାହାଙ୍କ ବଂଶ।” 29ତେବେ, ଆମ୍ଭେମାନେ ଈଶ୍ବରଙ୍କର ବଂଶ ହେବାରୁ ଈଶ୍ବରଙ୍କ ସ୍ୱରୂପକୁ ମନୁଷ୍ୟର ଶିଳ୍ପ ଓ କଳ୍ପନା ଅନୁସାରେ ଖୋଦିତ ସ୍ୱର୍ଣ୍ଣ କି ରୌପ୍ୟ କି ପ୍ରସ୍ତର ତୁଲ୍ୟ ବୁଝିବା ଆମ୍ଭମାନଙ୍କର ଉଚିତ୍ ନୁହେଁ। 30ଈଶ୍ବର ସେହି ଅଜ୍ଞାନତାର କାଳ ଉପେକ୍ଷା କରିଅଛନ୍ତି ସତ୍ୟ, କିନ୍ତୁ ଏବେ ସେ ସର୍ବତ୍ର ସମସ୍ତ ମନୁଷ୍ୟଙ୍କୁ ମନ-ପରିବର୍ତ୍ତନ କରିବା ନିମନ୍ତେ ଜଣାନ୍ତି; 31କାରଣ ଯେଉଁ ଦିନ ସେ ଆପଣା ନିରୂପିତ ବ୍ୟକ୍ତିଙ୍କ ଦ୍ୱାରା ଧାର୍ମିକତାରେ ଜଗତର ବିଚାର କରିବେ, ଏହିପରି ଗୋଟିଏ ଦିନ ସ୍ଥିର କରିଅଛନ୍ତି, ଆଉ ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉତ୍ଥାପନ କରି ଏହି ବିଷୟରେ ସମସ୍ତଙ୍କ ନିକଟରେ ପ୍ରମାଣ ଦେଇଅଛନ୍ତି। 32ମୃତମାନଙ୍କର ପୁନରୁତ୍ଥାନ କଥା ଶୁଣି କେହି କେହି ପରିହାସ କରିବାକୁ ଲାଗିଲେ; ଆଉ କେହି କେହି କହିଲେ, ଆମ୍ଭେମାନେ ଆଉ ଥରେ ଆପଣଙ୍କଠାରୁ ଏହି ବିଷୟ ଶୁଣିବା। 33ଏହି ପ୍ରକାରେ ପାଉଲ ସେମାନଙ୍କ ମଧ୍ୟରୁ ବାହାରିଗଲେ। 34କିନ୍ତୁ କୌଣସି କୌଣସି ଲୋକ ତାହାଙ୍କ ସପକ୍ଷ ହୋଇ ବିଶ୍ୱାସ କଲେ; ସେମାନଙ୍କ ମଧ୍ୟରେ ଏରିୟପାଗୀୟ ଦିୟନୂସୀୟ, ଦାମାରି ନାମ୍ନୀ ଜଣେ ମହିଳା ସେମାନଙ୍କ ସହିତ ଆଉ କେତେକ ଲୋକ ଥିଲେ। 18:1ଏହି ସମସ୍ତ ଘଟଣା ପରେ ପାଉଲ ଆଥିନୀ ସହରରୁ ପ୍ରସ୍ଥାନ କରି କରିନ୍ଥ ସହରକୁ ଆସିଲେ।
ପ୍ରତିଉତ୍ତର ଗୀତ
1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ତୁମ୍ଭେମାନେ ଆକାଶମଣ୍ଡଳରୁ ତାହାଙ୍କର ପ୍ରଶଂସା କର; ଊର୍ଦ୍ଧ୍ୱ ସ୍ଥାନରେ ତାହାଙ୍କର ପ୍ରଶଂସା କର। 2ହେ ତାହାଙ୍କର ଦୂତ ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର; ହେ ତାହାଙ୍କର ସୈନ୍ୟ ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର। 11ପୃଥିବୀର ରାଜାଗଣ ଓ ସକଳ ଗୋଷ୍ଠୀ; ଅଧିପତିଗଣ ଓ ପୃଥିବୀର ସକଳ ବିଚାରକର୍ତ୍ତା। 12ଯୁବକ ଓ ଯୁବତୀମାନେ; ବୃଦ୍ଧ ଓ ବାଳକମାନେ; 13ସେସମସ୍ତେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; କାରଣ କେବଳ ତାହାଙ୍କ ନାମ ଉନ୍ନତ ଅଟେ; ତାହାଙ୍କର ମହିମା ପୃଥିବୀ ଓ ସ୍ୱର୍ଗର ଉପରିସ୍ଥ। 14ସେ ଆପଣା ଲୋକମାନଙ୍କ ଶୃଙ୍ଗ ଉଠାଇଅଛନ୍ତି, ତାହା ତାହାଙ୍କ ସଦ୍ଭକ୍ତମାନଙ୍କର ଓ ତାହାଙ୍କ ନିକଟବର୍ତ୍ତୀ ଇସ୍ରାଏଲ-ସନ୍ତାନଗଣର ପ୍ରଶଂସାର ବିଷୟ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
ସୁସମାଚାର
12ମୋହର ତୁମ୍ଭମାନଙ୍କୁ ଆହୁରି ଅନେକ କଥା କହିବାର ଅଛି, ମାତ୍ର ତୁମ୍ଭେମାନେ ଏବେ ସେହିସବୁ ସହି ପାର ନାହିଁ। 13କିନ୍ତୁ ସେ, ଅର୍ଥାତ୍, ସତ୍ୟମୟ ଆତ୍ମା ଆସିଲେ ସେ ପଥ ଦେଖାଇ ତୁମ୍ଭମାନଙ୍କୁ ସମସ୍ତ ସତ୍ୟରେ ପ୍ରବେଶ କରାଇବେ, କାରଣ ସେ ଆପଣାଠାରୁ କଥା କହିବେ ନାହିଁ, ମାତ୍ର ଯାହା ଯାହା ଶୁଣିବେ, ସେହିସବୁ କହିବେ, ପୁଣି, ଆଗାମୀ ବିଷୟସବୁ ତୁମ୍ଭମାନଙ୍କୁ ଜଣାଇବେ। 14ସେ ମୋତେ ଗୌରବାନ୍ୱିତ କରିବେ, କାରଣ ସେ ମୋʼ ବିଷୟ ଘେନି ତୁମ୍ଭମାନଙ୍କୁ ଜଣାଇବେ। 15ଯାହା ଯାହା ପିତାଙ୍କର, ସେହିସବୁ ମୋହର; ଏହି ହେତୁ ମୁଁ କହିଲି, ସେ ମୋହର ବିଷୟ ଘେନି ତୁମ୍ଭମାନଙ୍କୁ ଜଣାଇବେ।”
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର