Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମଇ 2027 › ମଇ 5

ଅର୍ଥୋଡକ୍ସ ପଞ୍ଜିକା · 22 ଅପ୍ରେଲ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 5 ମଇ 2027

ବୁଧବାର · ଉଜ୍ଜ୍ୱଳ ସପ୍ତାହ · ସ୍ୱର 4

ପର୍ବ ଓ ସନ୍ଥ

ଉଜ୍ଜ୍ୱଳ ସପ୍ତାହର ବୁଧବାର

ଉପବାସମୁକ୍ତ ସପ୍ତାହ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ପ୍ରେରି 2:22–36

22ହେ ଇସ୍ରାଏଲୀୟ ଲୋକମାନେ, ଏହି ସମସ୍ତ କଥା ଶୁଣନ୍ତୁ। ନାଜରିତୀୟ ଯୀଶୁ ନାନା ଶକ୍ତିର କାର୍ଯ୍ୟ, ଅଦ୍ଭୁତ କର୍ମ ଓ ଲକ୍ଷଣ ଦ୍ୱାରା ଆପଣମାନଙ୍କ ନିକଟରେ ଈଶ୍ବରଙ୍କ ପ୍ରେରିତ ବ୍ୟକ୍ତି ବୋଲି ପ୍ରମାଣିତ ହୋଇଅଛନ୍ତି, ତାହାଙ୍କ ଦ୍ୱାରା ଈଶ୍ବର ଯେ ଆପଣାମାନଙ୍କ ମଧ୍ୟରେ ଏହି ସମସ୍ତ କର୍ମ କରିଅଛନ୍ତି, ଏହା ଅାପଣମାନେ ନିଜେ ଜାଣନ୍ତି; 23ସେହି ବ୍ୟକ୍ତି ଈଶ୍ବରଙ୍କ ନିରୂପିତ ସଙ୍କଳ୍ପ ଓ ପୂର୍ବାଜ୍ଞାନୁସାରେ ସମର୍ପିତ ହୁଅନ୍ତେ, ଆପଣମାନେ ତାହାଙ୍କୁ ଅଧାର୍ମିକମାନଙ୍କ ହସ୍ତ ଦ୍ୱାରା କ୍ରୁଶାର୍ପଣ କରି ବଧ କରିଥିଲେ; 24କିନ୍ତୁ ଈଶ୍ବର ମୃତ୍ୟୁର ବନ୍ଧନରୁ ମୁକ୍ତ କରି ତାହାଙ୍କୁ ଉଠାଇଅଛନ୍ତି, କାରଣ ସେ ଯେ ମୃତ୍ୟୁ ଦ୍ୱାରା ଆବଦ୍ଧ ରହିବେ ତାହା ଅସମ୍ଭବ। 25ଦାଉଦ ତ ତାହାଙ୍କ ବିଷୟରେ କହନ୍ତି, “‘ମୁଁ ସର୍ବଦା ମୋହର ସମ୍ମୁଖରେ ପ୍ରଭୁଙ୍କୁ ଦର୍ଶନ କରୁଥିଲି, କାରଣ ମୁଁ ଯେପରି ବିଚଳିତ ନ ହୁଏ, ସେଥିପାଇଁ ସେ ମୋହର ଦକ୍ଷିଣ ପାର୍ଶ୍ୱରେ ଅଛନ୍ତି। 26ତେଣୁ ମୋହର ହୃଦୟ ପ୍ରଫୁଲ୍ଲ ଓ ମୋହର ଜିହ୍ୱା ଉଲ୍ଲସିତ ହେଲା, ଆହୁରି ମୋହର ଶରୀର ମଧ୍ୟ ଭରସାରେ ବାସ କରିବ, 27କାରଣ ତୁମ୍ଭେ ମୋହର ପ୍ରାଣକୁ ପାତାଳରେ ପରିତ୍ୟାଗ କରିବ ନାହିଁ, କିଅବା ଆପଣା ପବିତ୍ର ଜଣକୁ କ୍ଷୟ ପାଇବାକୁ ଦେବ ନାହିଁ। 28ତୁମ୍ଭେ ମୋତେ ଜୀବନର ପଥ ଜ୍ଞାତ କରାଇଅଛ, ତୁମ୍ଭେ ଆପଣା ଛାମୁରେ ମୋତେ ଆନନ୍ଦରେ ପୂର୍ଣ୍ଣ କରିବ।’” 29ହେ ଭାଇମାନେ, ପିତୃକୁଳପତି ଦାଉଦଙ୍କ ବିଷୟରେ ମୁଁ ଆପଣମାନଙ୍କୁ ମୁକ୍ତ କଣ୍ଠରେ କହିପାରେ ଯେ, ସେ ମଲେ, ପୁଣି, ସମାଧିପ୍ରାପ୍ତ ହେଲେ, ଆଉ ତାଙ୍କର ସମାଧି-ସ୍ଥାନ ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ମଧ୍ୟରେ ଅଛି। 30ରାଜା ଦାଉଦ ଜଣେ ଭାବବାଦୀ ଭାବରେ ତାହାଙ୍କର ଔରସଜାତ ଜଣଙ୍କୁ ତାହାଙ୍କ ସିଂହାସନରେ ବସାଇବା ପାଇଁ ଈଶ୍ବର ତାହାଙ୍କ ନିକଟରେ ଶପଥ କରି ପ୍ରତିଜ୍ଞା କରିଥିଲେ ବୋଲି ଜାଣିଥିଲେ। 31ଏହା ଜାଣିବାରୁ ସେ ଭବିଷ୍ୟତ ଦର୍ଶନ ଦ୍ୱାରା ଖ୍ରୀଷ୍ଟଙ୍କର ପୁନରୁତ୍ଥାନ ବିଷୟରେ କହିଥିଲେ, କାରଣ ସେ ପାତାଳରେ ପରିତ୍ୟକ୍ତ ହେଲେ ନାହିଁ, କିଅବା ତାହାଙ୍କ ଶରୀର କ୍ଷୟ ପାଇଲା ନାହିଁ। 32ଏହି ଯୀଶୁଙ୍କୁ ଈଶ୍ବର ଉଠାଇଅଛନ୍ତି, ସେହି ବିଷୟରେ ଆମ୍ଭେମାନେ ସମସ୍ତେ ସାକ୍ଷୀ। 33ଅତଏବ, ଈଶ୍ବର ଯୀଶୁଙ୍କୁ ଉନ୍ନତ କରି ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ବସାଇ ତାହାଙ୍କ ସହିତ ରାଜତ୍ୱ କରିବାକୁ ଅଧିକାର ଦେଲେ, ଏବଂ ସେ ଆମ୍ଭମାନଙ୍କୁ ପିତାଙ୍କ ଦ୍ୱାରା ପ୍ରତିଜ୍ଞାତ ପବିତ୍ର ଆତ୍ମାଙ୍କୁ ଦେଲେ ଯାହାଙ୍କୁ ଆପଣମାନେ ଦେଖୁଅଛନ୍ତି ଓ ଶୁଣୁଅଛନ୍ତି। 34କାରଣ ଦାଉଦ ରାଜା ସ୍ୱର୍ଗାରୋହଣ କରି ନ ଥିଲେ, କିନ୍ତୁ ସେ ନିଜେ କହନ୍ତି, “ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ, 35‘ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ପାଦପୀଠ କରି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ।’” 36ଅତଏବ, ସମସ୍ତ ଇସ୍ରାଏଲକୂଳ ନିଶ୍ଚୟ ଜାଣନ୍ତୁ ଯେ, ଯେଉଁ ଯୀଶୁଙ୍କୁ ଆପଣମାନେ କ୍ରୁଶରେ ବଧ କଲେ, ତାହାଙ୍କୁ ଈଶ୍ବର, ପ୍ରଭୁ ଓ ଖ୍ରୀଷ୍ଟ ଉଭୟ ପଦରେ ନିଯୁକ୍ତ କରିଅଛନ୍ତି।

ସୁସମାଚାର

ଯୋହ 1:35–51

35ତହିଁ ଆରଦିନ ପୁନର୍ବାର ଯୋହନ ଓ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣ ଠିଆ ହୋଇଥିଲେ; 36ଆଉ, ସେ ଯୀଶୁଙ୍କୁ ସେହି ବାଟ ଦେଇ ଯାଉଥିବା ଦେଖି ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ଏହି ଦେଖ, ଈଶ୍ବରଙ୍କ ମେଷଶାବକ। 37ସେହି ଦୁଇ ଜଣ ଶିଷ୍ୟ ତାହାଙ୍କ କଥା ଶୁଣି ଯୀଶୁଙ୍କ ପଛେ ପଛେ ଗଲେ। 38ଯୀଶୁ ବୁଲିପଡ଼ି ସେମାନଙ୍କୁ ପଛେ ପଛେ ଆସୁଥିବା ଦେଖି ପଚାରିଲେ, “ତୁମ୍ଭେମାନେ କଅଣ ଖୋଜୁଅଛ?” ସେମାନେ ତାହାଙ୍କୁ ପଚାରିଲେ, ରାବ୍‌ବୀ (ଅର୍ଥାତ୍‍ ଗୁରୁ), ଆପଣ କେଉଁଠାରେ ରୁହନ୍ତି? 39ସେ ସେମାନଙ୍କୁ କହିଲେ, “ଆସ, ଦେଖିବ।” ସେଥିରେ ସେମାନେ ଯାଇ ତାହାଙ୍କ ବସା ଦେଖିଲେ, ପୁଣି, ସେହି ଦିନ ତାହାଙ୍କ ସାଙ୍ଗରେ ରହିଲେ; କାରଣ ସେତେବେଳେ ପ୍ରାୟ ସନ୍ଧ୍ୟା ଚାରି ଘଣ୍ଟା ହୋଇଥିଲା। 40ଯେଉଁ ଦୁଇ ଜଣ ଯୋହନଙ୍କ କଥା ଶୁଣି ଯୀଶୁଙ୍କ ପଛେ ପଛେ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଶିମୋନ ପିତରଙ୍କ ଭାଇ ଆନ୍ଦ୍ରିୟ ଥିଲେ। 41ସେ ପ୍ରଥମେ ଆପଣା ଭାଇ ଶିମୋନଙ୍କ ଦେଖା ପାଇ ତାହାଙ୍କୁ କହିଲେ, ଆମ୍ଭେମାନେ ମସୀହଙ୍କର (ଅର୍ଥାତ୍‍ ଖ୍ରୀଷ୍ଟଙ୍କୁ) ଦେଖା ପାଇଅଛୁ। 42ସେ ତାହାଙ୍କୁ ଯୀଶୁଙ୍କ ନିକଟକୁ ଆଣିଲେ। ଯୀଶୁ ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, “ତୁମ୍ଭେ ଯୋହନଙ୍କ ପୁତ୍ର ଶିମୋନ। ତୁମ୍ଭେ କୈଫା (ଅର୍ଥାତ୍‍ ପିତର) ନାମରେ ଖ୍ୟାତ ହେବ।” 43ତହିଁ ଆରଦିନ ଯୀଶୁ ଗାଲିଲୀକୁ ବାହାରିଯିବା ପାଇଁ ଇଚ୍ଛା କଲେ, ଆଉ ସେ ଫିଲିପ୍ପଙ୍କ ଦେଖା ପାଇ ତାହାଙ୍କୁ କହିଲେ, “ମୋହର ଅନୁଗମନ କର।” 44ଫିଲିପ୍ପ ବେଥ୍‌ସାଇଦାର ଲୋକ ଥିଲେ, ତାହା ଆନ୍ଦ୍ରିୟ ଓ ପିତରଙ୍କର ନଗର ଥିଲା। 45ଫିଲିପ୍ପ ନିଥନିୟେଲଙ୍କୁ ଦେଖା ପାଇ ତାହାଙ୍କୁ କହିଲେ, ଯାହାଙ୍କ ବିଷୟରେ ମୋଶା ବ୍ୟବସ୍ଥାରେ ଲେଖିଅଛନ୍ତି, ପୁଣି, ଭାବବାଦୀମାନେ ମଧ୍ୟ ଲେଖିଅଛନ୍ତି, ଆମ୍ଭେମାନେ ତାହାଙ୍କର ଦେଖା ପାଇଅଛୁ; ସେ ଯୋଷେଫଙ୍କ ପୁତ୍ର ନାଜରିତୀୟ ଯୀଶୁ। 46ନିଥନିୟେଲ ତାହାଙ୍କୁ ପଚାରିଲେ, “ନାଜରିତରୁ କି କୌଣସି ଉତ୍ତମ ବିଷୟ ଉତ୍ପନ୍ନ ହୋଇପାରେ?” ଫିଲିପ୍ପ ତାହାଙ୍କୁ କହିଲେ, “ଆସି ଦେଖ।” 47ଯୀଶୁ ନିଥନିୟେଲଙ୍କୁ ଆପଣା ନିକଟକୁ ଆସୁଥିବା ଦେଖି ତାହାଙ୍କ ବିଷୟରେ କହିଲେ, “ଏହି ଦେଖ, ପ୍ରକୃତରେ ଏ ଜଣେ ଇସ୍ରାଏଲୀୟ ଲୋକ, ଏହାଙ୍କଠାରେ ଛଳନା ନାହିଁ।” 48ନିଥନିୟେଲ ତାହାଙ୍କୁ ପଚାରିଲେ, ଆପଣ ମୋତେ କିପରି ଚିହ୍ନିଲେ? ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଫିଲିପ୍ପ ତୁମ୍ଭକୁ ଡାକିବା ପୂର୍ବେ ତୁମ୍ଭେ ଯେତେବେଳେ ଡିମ୍ବିରିବୃକ୍ଷ ତଳେ ଥିଲ, ସେତେବେଳେ ମୁଁ ତୁମ୍ଭକୁ ଦେଖିଥିଲି।” 49ନିଥନିୟେଲ ତାହାଙ୍କୁ ଉତ୍ତର ଦେଲେ, ହେ ଗୁରୁ ଆପଣ ଈଶ୍ବରଙ୍କ ପୁତ୍ର, ଆପଣ ଇସ୍ରାଏଲର ରାଜା। 50ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ମୁଁ ତୁମ୍ଭକୁ ଡିମ୍ବିରିବୃକ୍ଷ ତଳେ ଦେଖିଥିଲି ବୋଲି କହିବାରୁ କି ତୁମ୍ଭେ ବିଶ୍ୱାସ କରୁଅଛ? ତୁମ୍ଭେ ଏହାଠାରୁ ଆହୁରି ମହତ‍୍-ମହତ‍୍ ବିଷୟ ଦେଖିବ।” 51ପୁଣି, ସେ ତାହାଙ୍କୁ କହିଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ସ୍ୱର୍ଗକୁ ଉନ୍ମୁକ୍ତ ଓ ଈଶ୍ବରଙ୍କ ଦୂତମାନଙ୍କୁ ମନୁଷ୍ୟପୁତ୍ରଙ୍କ ଉପରେ ଆରୋହଣ ଓ ଅବତରଣ କରିବା ଦେଖିବ।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅପ୍ରେଲ 22 ନାଗରିକ ପଞ୍ଜିକାର ମଇ 5। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର