ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମଇ 2027 › ମଇ 7
ଅର୍ଥୋଡକ୍ସ ପଞ୍ଜିକା · 24 ଅପ୍ରେଲ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 7 ମଇ 2027
ଶୁକ୍ରବାର · ଉଜ୍ଜ୍ୱଳ ସପ୍ତାହ · ସ୍ୱର 6
ପର୍ବ ଓ ସନ୍ଥ
ଉଜ୍ଜ୍ୱଳ ସପ୍ତାହର ଶୁକ୍ରବାର
ପରମ ପବିତ୍ର ଈଶ୍ବରଜନନୀଙ୍କ ଜୀବନଦାୟୀ ଝରଣା
ଉପବାସମୁକ୍ତ ସପ୍ତାହ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
1ଦିନେ ପ୍ରାର୍ଥନାର ନିର୍ଦ୍ଧିଷ୍ଟ ସମୟରେ, ଅର୍ଥାତ୍ ଅପରାହ୍ନ ତିନି ଘଣ୍ଟା ବେଳେ ପିତର ଓ ଯୋହନ ମନ୍ଦିରକୁ ଯାଉଥିଲେ। 2ଏପରି ସମୟରେ ମାତୃଗର୍ଭରୁ ଖଞ୍ଜ ଜଣେ ଲୋକ ବୁହା ହୋଇ ଯାଉଥିଲା। ମନ୍ଦିରରେ ପ୍ରବେଶ କରୁଥିବା ଲୋକମାନଙ୍କଠାରୁ ଭିକ୍ଷା ମାଗିବା ନିମନ୍ତେ ଲୋକେ ତାହାକୁ ପ୍ରତିଦିନ ସେଥିର ସୁନ୍ଦର ନାମକ ଦ୍ୱାରରେ ରଖିଦେଉଥିଲେ। 3ସେ ପିତର ଓ ଯୋହନଙ୍କୁ ମନ୍ଦିରରେ ପ୍ରବେଶ କରିବାକୁ ଯାଉଥିବା ଦେଖି ଭିକ୍ଷା ମାଗିବାକୁ ଲାଗିଲା 4ପିତର ଓ ଯୋହନ ତାହା ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁଲେ, ପୁଣି, ପିତର କହିଲେ, “ଆମ୍ଭମାନଙ୍କ ଆଡ଼କୁ ଚାହଁ।” 5ସେଥିରେ ସେ ସେମାନଙ୍କଠାରୁ କିଛି ପାଇବା ଆଶାରେ ସେମାନଙ୍କ ଆଡ଼କୁ ଚାହିଁ ରହିଲା। 6କିନ୍ତୁ ପିତର କହିଲେ, ରୂପା କି ସୁନା ମୋହର ନାହିଁ; ମାତ୍ର ମୋହର ଯାହା ଅଛି, ତାହା ମୁଁ ତୁମ୍ଭକୁ ଦେଉଅଛି; ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଚାଲ। 7ପୁଣି, ସେ ତାହାର ଡାହାଣ ହାତ ଧରି ତାହାକୁ ଉଠାଇଲେ; ସେଥିରେ ସେହିକ୍ଷଣି ତାହାର ପାଦ ଓ ଗୋଡ଼ର ଗଣ୍ଠିସବୁ ବଳ ପାଇଲା, 8ଆଉ ସେ କୁଦା ମାରି ଠିଆ ହେଲା; ପୁଣି, ଚାଲିବାକୁ ଲାଗିଲା; ଆଉ, ସେ ଚାଲୁ ଚାଲୁ ଓ କୁଦା ମାରୁ ମାରୁ, ପୁଣି, ଈଶ୍ବରଙ୍କର ପ୍ରଶଂସା କରୁ କରୁ ସେମାନଙ୍କ ସହିତ ମନ୍ଦିରରେ ପ୍ରବେଶ କଲା।
ପତ୍ର (ଈଶ୍ବରଜନନୀଙ୍କ ପାଇଁ)
5ଖ୍ରୀଷ୍ଟ ଯୀଶୁଙ୍କର ଯେପରି ମନ ଥିଲା, ତୁମ୍ଭମାନଙ୍କର ସେହିପରି ମନ ହେଉ; 6ସେ ଈଶ୍ବରରୂପୀ ହେଲେ ହେଁ ଈଶ୍ବରଙ୍କ ସହିତ ସମାନ ହୋଇ ରହିବା ନିଜ ନିମନ୍ତେ ଧରି ରଖିବାର ବିଷୟ ମନେ କଲେ ନାହିଁ, 7କିନ୍ତୁ ମନୁଷ୍ୟ ସଦୃଶ ହୋଇ ଦାସରୂପ ଧାରଣ କରି ଆପଣାକୁ ଶୂନ୍ୟ କଲେ; 8ପୁଣି, ମନୁଷ୍ୟ ଭାବରେ ଦେଖାଯାଇ ମୃତ୍ୟୁ ପର୍ଯ୍ୟନ୍ତ, ହଁ, କ୍ରୁଶୀୟ ମୃତ୍ୟୁ ପର୍ଯ୍ୟନ୍ତ ଆଜ୍ଞାବହ ହୋଇ ଆପଣାକୁ ଅବନତ କଲେ। 9ଏହି କାରଣରୁ ଈଶ୍ବର ତାହାଙ୍କୁ ଅତିଶୟ ଉନ୍ନତ କରିଅଛନ୍ତି, ପୁଣି, ସମସ୍ତ ନାମ ଅପେକ୍ଷା ସର୍ବୋତ୍କୃଷ୍ଟ ନାମ ତାହାଙ୍କୁ ପ୍ରଦାନ କରିଅଛନ୍ତି, 10ଯେପରି ସ୍ୱର୍ଗ, ମର୍ତ୍ତ୍ୟ ଓ ପାତାଳରେ ଥିବା ପ୍ରତ୍ୟେକ ଆଣ୍ଠୁ ଯୀଶୁଙ୍କ ନାମରେ ନତ ହେବ, 11ପୁଣି, ପିତା ଈଶ୍ବରଙ୍କ ଗୌରବ ନିମନ୍ତେ ପ୍ରତ୍ୟେକ ଜିହ୍ୱା ଯୀଶୁ ଖ୍ରୀଷ୍ଟ ପ୍ରଭୁ ବୋଲି ସ୍ୱୀକାର କରିବ।
ସୁସମାଚାର
12ଏଥିଉତ୍ତାରେ ସେ ଆପଣା ମାତା, ଭାଇବୃନ୍ଦ ଓ ଶିଷ୍ୟମାନଙ୍କ ସହିତ କଫର୍ନାହୂମକୁ ଗଲେ; ପୁଣି, ସେମାନେ ସେଠାରେ ଅଧିକ ଦିନ ରହିଲେ ନାହିଁ। 13ସେତେବେଳେ ଯିହୁଦୀମାନଙ୍କର ନିସ୍ତାର ପର୍ବ ସନ୍ନିକଟ ହୋଇଥିଲା, ଆଉ ଯୀଶୁ ଯିରୂଶାଲମ ସହରକୁ ଗଲେ। 14ପୁଣି, ସେ ମନ୍ଦିରରେ ଗୋରୁ, ମେଣ୍ଢା ଓ କାପ୍ତା-ବ୍ୟବସାୟୀମାନଙ୍କୁ ଆଉ ମୁଦ୍ରା-ବ୍ୟବସାୟୀମାନଙ୍କୁ ବସିଥିବା ଦେଖି ଦଉଡ଼ିରେ ଗୋଟିଏ କୋରଡ଼ା ବନାଇ ମେଣ୍ଢା ଓ ଗୋରୁ ସହିତ ସମସ୍ତଙ୍କୁ ମନ୍ଦିରରୁ ବାହାର କରିଦେଲେ; 15ପୁଣି, ମୁଦ୍ରା-ବ୍ୟବସାୟୀମାନଙ୍କର ମୁଦ୍ରାସବୁ ବିଞ୍ଚିଦେଇ ସେମାନଙ୍କ ମେଜଗୁଡ଼ାକ ଓଲଟାଇ ପକାଇଲେ; 16ଆଉ, ସେ କାପ୍ତା-ବ୍ୟବସାୟୀମାନଙ୍କୁ କହିଲେ, “ଏଗୁଡ଼ିକ ଏଠାରୁ ଘେନିଯାଅ, ମୋହର ସ୍ୱର୍ଗସ୍ଥ ପିତା ଈଶ୍ବରଙ୍କର ଗୃହକୁ ବାଣିଜ୍ୟର ଗୃହ କର ନାହିଁ।” 17ତୁମ୍ଭ ଗୃହ ନିମନ୍ତେ ଉଦ୍ଯୋଗ ମୋତେ ଗ୍ରାସ କରିବ, ଏହା ଲେଖାଅଛି ବୋଲି ତାହାଙ୍କ ଶିଷ୍ୟମାନଙ୍କର ମନରେ ପଡ଼ିଲା। 18ସେଥିରେ କେତେକ ଯିହୁଦୀ ନେତାମାନେ ତାହାଙ୍କୁ ଉତ୍ତର ଦେଲେ, ତୁମ୍ଭେ ଯେ ଏସମସ୍ତ କରିବାକୁ ଅଧିକାର ପାଇଅଛ, ଆମ୍ଭମାନଙ୍କୁ ସେଥିର କି ଚିହ୍ନ ଦେଖାଉଅଛ? 19ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ଏହି ମନ୍ଦିରକୁ ବିନାଶ କର, ଆଉ ତିନି ଦିନ ମଧ୍ୟରେ ମୁଁ ତାହା ତୋଳି ଦେବି।” 20ସେଥିରେ ଯିହୁଦୀମାନେ କହିଲେ, ଏହି ମନ୍ଦିର ନିର୍ମାଣ କରିବା ନିମନ୍ତେ ଛୟାଳିଶ ବର୍ଷ ଲାଗିଅଛି; ଆଉ ତୁମ୍ଭେ କଅଣ ତାହାକୁ ତିନି ଦିନରେ ତୋଳି ଦେବ? 21କିନ୍ତୁ ସେ ଆପଣା ଶରୀରରୂପ ମନ୍ଦିର ସମ୍ବନ୍ଧରେ କହୁଥିଲେ। 22ଏଣୁ ସେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହେଲା ଉତ୍ତାରେ ତାହାଙ୍କ ଶିଷ୍ୟମାନେ ସେ ଏହା କହିଥିଲେ ବୋଲି ସ୍ମରଣ କଲେ; ପୁଣି, ସେମାନେ ଧର୍ମଶାସ୍ତ୍ର ଓ ଯୀଶୁଙ୍କ କଥିତ ବାକ୍ୟ ବିଶ୍ୱାସ କଲେ।
ସୁସମାଚାର (ଈଶ୍ବରଜନନୀଙ୍କ ପାଇଁ)
38ସେମାନେ ଯାତ୍ରା କରୁଥିବା ସମୟରେ ସେ ଗୋଟିଏ ଗ୍ରାମରେ ପ୍ରବେଶ କଲେ ଏବଂ ମାର୍ଥା ନାମରେ ଜଣେ ସ୍ତ୍ରୀଲୋକ ଯୀଶୁଙ୍କୁ ନିଜ ଘରକୁ ଡାକିଲେ। 39ତାହାଙ୍କର ଜଣେ ଭଉଣୀ ଥିଲେ ତାହାଙ୍କ ନାମ ମରୀୟମ, ସେ ପ୍ରଭୁଙ୍କ ପାଦ ତଳେ ବସି ତାହାଙ୍କ ବାକ୍ୟ ଶୁଣୁଥିଲେ। 40କିନ୍ତୁ ମାର୍ଥା ଖାଦ୍ୟ ପ୍ରସ୍ତୁତ କରିବାରେ ବହୁତ ବ୍ୟସ୍ତ ହେଉଥିଲେ; ଏଣୁ ସେ ତାହାଙ୍କ ନିକଟକୁ ଆସି କହିଲେ, ହେ ପ୍ରଭୁ, ମୋହର ଭଉଣୀ ଯେ ଏକାକୀ ମୋʼ ଉପରେ ପରିଚର୍ଯ୍ୟାର ଭାର ପକାଇ ଦେଇଅଛି ସେ ଆଡ଼କୁ କଅଣ ଆପଣଙ୍କର ମନ ନାହିଁ? ତେବେ ମୋତେ ସାହାଯ୍ୟ କରିବା ନିମନ୍ତେ ତାହାକୁ କୁହନ୍ତୁ। 41କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, “ମାର୍ଥା, ମାର୍ଥା, ତୁମ୍ଭେ ବହୁତ ବିଷୟରେ ଚିନ୍ତିତ ଓ ବ୍ୟତିବ୍ୟସ୍ତ ହେଉଅଛ, 42କିନ୍ତୁ ଅଳ୍ପ କେତୋଟି, ବରଂ ଗୋଟିଏ ମାତ୍ର ଆବଶ୍ୟକ; ମରୀୟମ ତ ଉତ୍ତମ ଭାଗ ମନୋନୀତ କରିଅଛି, ଆଉ ତାହା ତାହାଠାରୁ ନିଆଯିବ ନାହିଁ।” 11:27ସେ ଏହି ସମସ୍ତ କଥା କହୁଥିବା ସମୟରେ ଲୋକସମୂହ ମଧ୍ୟରେ ଜଣେ ସ୍ତ୍ରୀଲୋକ ଉଚ୍ଚସ୍ୱରରେ କହିଲା, ଧନ୍ୟ ସେହି ଗର୍ଭ, ଯାହା ତୁମ୍ଭକୁ ଧାରଣ କଲା ଓ ସେହି ସ୍ତନ, ଯହିଁରୁ ତୁମ୍ଭେ ପାନ କଲ। 28ମାତ୍ର ସେ କହିଲେ, “ନା, ବରଂ ଯେଉଁମାନେ ଈଶ୍ବରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେମାନେ ଧନ୍ୟ।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅପ୍ରେଲ 24 ନାଗରିକ ପଞ୍ଜିକାର ମଇ 7। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର