Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମଇ 2027 › ମଇ 9

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 9 ମଇ 2027

ରବିବାର · ପାସ୍କା କାଳର ସପ୍ତମ ସପ୍ତାହ

ପର୍ବ ଓ ସନ୍ଥ

ପାସ୍କା କାଳର ସପ୍ତମ ରବିବାର

ରବିବାର · ଉପାସନାର ରଙ୍ଗ: ଧଳା

ଦିନର ପାଠ

ପ୍ରଥମ ପାଠ

ପ୍ରେରି 1:15–17, 20–26

15ସେହି ସମୟରେ ପିତର ଭାଇମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ; (ସେଠାରେ ଯୀଶୁଙ୍କର ଅନୁଗତ ପ୍ରାୟ ଶହେ କୋଡ଼ିଏ ଜଣ ଥିଲେ), 16ମୋହର ଭାଇମାନେ, ଯେଉଁ ଯିହୂଦା ଯୀଶୁଙ୍କୁ ଧରିବା ଲୋକମାନଙ୍କୁ ବାଟ ଦେଖାଇଥିଲା, ତାହା ବିଷୟରେ ପବିତ୍ର ଆତ୍ମା ପୂର୍ବରୁ ଦାଉଦଙ୍କ ମୁଖରେ ଯାହା କହିଥିଲେ, ସେହି ଶାସ୍ତ୍ରୀୟ ବାକ୍ୟ ସଫଳ ହେବା ଆବଶ୍ୟକ ଥିଲା; 17କାରଣ ସେ ଆମ୍ଭମାନଙ୍କ ମଧ୍ୟରେ ଜଣେ ବୋଲି ଗଣାଯାଇଥିଲା ଓ ଏହି ସେବାପଦରେ ଅଂଶ ପ୍ରାପ୍ତ ହୋଇଥିଲା। 20ଆଉ, ଗୀତସଂହିତା ପୁସ୍ତକରେ ଲେଖାଅଛି, “‘ତାହାର ବାସସ୍ଥାନ ଶୂନ୍ୟ ହେଉ, ସେଠାରେ କେହି ବାସ ନ କରୁ।’ ଏବଂ, ‘ତାହାର ଅଧ୍ୟକ୍ଷ ପଦ ଅନ୍ୟ ଜଣଙ୍କୁ ଦିଆଯାଉ।’ 21ଅତଏବ, ପ୍ରଭୁ ଯୀଶୁ ଯୋହନଙ୍କ ଦ୍ୱାରା ବାପ୍ତିସ୍ମ ନେବା ସମୟଠାରୁ ଆରମ୍ଭ କରି, ଆମ୍ଭମାନଙ୍କ ନିକଟରୁ ଊର୍ଦ୍ଧ୍ୱକୁ ନିଆଯିବା ଦିନ ପର୍ଯ୍ୟନ୍ତ ଯେତେ ସମୟ ଆମ୍ଭମାନଙ୍କ ମଧ୍ୟରେ ଗମନାଗମନ କରୁଥିଲେ, 22ସେହି ସମୟରେ ଯେଉଁ ଲୋକମାନେ ଆମ୍ଭମାନଙ୍କ ସଙ୍ଗୀ ହୋଇଅଛନ୍ତି, ସେମାନଙ୍କ ମଧ୍ୟରୁ ଜଣେ ଆମ୍ଭମାନଙ୍କ ସହିତ ତାହାଙ୍କ ପୁନରୁତ୍ଥାନର ସାକ୍ଷୀ ହେବା ଆବଶ୍ୟକ।” 23ସେଥିରେ ସେମାନେ ଦୁଇ ଜଣଙ୍କୁ, ଅର୍ଥାତ୍‍ ଯୋଷେଫଙ୍କୁ, ଯାହାକୁ ବର୍ଶବ୍ବା ବୋଲି କହନ୍ତି ଓ ଯାହାଙ୍କ ଉପନାମ ଯୂସ୍ତ, ତାହାଙ୍କୁ ଓ ମଥିୟଙ୍କୁ ପୃଥକ୍ କରି ଏହି ପ୍ରାର୍ଥନା କଲେ, 24“ହେ ସର୍ବାନ୍ତର୍ଯ୍ୟାମୀ ପ୍ରଭୁ, ଯିହୂଦା ନିଜ ଉପଯୁକ୍ତ ସ୍ଥାନକୁ ଯିବା ନିମନ୍ତେ ଏହି ଯେଉଁ ସେବା ଓ ପ୍ରେରିତ ପଦରୁ ପତିତ ହୋଇଅଛି, 25ସେହି ପ୍ରେରିତପଦ ଗ୍ରହଣ କରିବା ପାଇଁ ଏହି ଦୁଇ ଜଣଙ୍କ ମଧ୍ୟରୁ ତୁମ୍ଭେ କାହାକୁ ମନୋନୀତ କରିଅଛ, ତାହା ଦେଖାଇଦିଅ।” 26ଆଉ, ସେମାନେ ସେହି ଦୁଇ ଜଣଙ୍କ ନିମନ୍ତେ ଗୁଲିବାଣ୍ଟ କଲେ, ପୁଣି, ମଥିୟଙ୍କ ନାମରେ ଗୁଲି ଉଠିଲା; ସେଥିରେ ସେ ଏଗାର ଜଣ ପ୍ରେରିତଙ୍କ ସହିତ ଗଣିତ ହେଲେ।

ପ୍ରତିଉତ୍ତର ଗୀତ

ଗୀତ 103:1–2, 11–12, 19–20

1ଦାଉଦଙ୍କର ଗୀତ। ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର; ହେ ମୋହର ଅନ୍ତରସ୍ଥ ସମସ୍ତ, ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର। 2ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର ଓ ତାହାଙ୍କର ମଙ୍ଗଳଦାନସବୁ ପାସୋର ନାହିଁ; 11କାରଣ ପୃଥିବୀରୁ ଆକାଶମଣ୍ଡଳ ଯେପରି ଉଚ୍ଚ, ସେପରି ତାହାଙ୍କ ଭୟକାରୀମାନଙ୍କ ପ୍ରତି ତାହାଙ୍କ ଦୟା ମହତ। 12ପୂର୍ବରୁ ପଶ୍ଚିମ ଯେତେ ଦୂର, ସେ ଆମ୍ଭମାନଙ୍କଠାରୁ ଆମ୍ଭମାନଙ୍କ ଅପରାଧ ସେତେ ଦୂର କରିଅଛନ୍ତି। 19ସଦାପ୍ରଭୁ ସ୍ୱର୍ଗରେ ଆପଣା ସିଂହାସନ ସ୍ଥାପନ କରିଅଛନ୍ତି; ପୁଣି, ତାହାଙ୍କ ରାଜ୍ୟ ସମସ୍ତଙ୍କ ଉପରେ କର୍ତ୍ତୃତ୍ୱ କରେ। 20ହେ ସଦାପ୍ରଭୁଙ୍କ ବାକ୍ୟସାଧକ ଓ ତାହାଙ୍କ ବାକ୍ୟର ରବ ଶ୍ରବଣକାରୀ, ବଳରେ ପରାକ୍ରାନ୍ତ ଦୂତଗଣ, ତୁମ୍ଭେମାନେ ତାହାଙ୍କର ଧନ୍ୟବାଦ କର।

ଦ୍ୱିତୀୟ ପାଠ

ପ୍ର. ଯୋହ 4:11–16

11ହେ ପ୍ରିୟମାନେ, ଈଶ୍ବର ଯଦି ଆମ୍ଭମାନଙ୍କୁ ଏପରି ପ୍ରେମ କଲେ, ତେବେ ଆମ୍ଭମାନଙ୍କର ମଧ୍ୟ ପରସ୍ପରକୁ ପ୍ରେମ କରିବା ଉଚିତ୍। 12କେହି କେବେ ଈଶ୍ବରଙ୍କୁ ଦେଖି ନାହିଁ; ଆମ୍ଭେମାନେ ଯଦି ପରସ୍ପରକୁ ପ୍ରେମ କରୁ, ତାହାହେଲେ ଈଶ୍ବର ଆମ୍ଭମାନଙ୍କଠାରେ ଅଛନ୍ତି ଓ ତାହାଙ୍କ ପ୍ରେମ ଆମ୍ଭମାନଙ୍କଠାରେ ସିଦ୍ଧ ହୋଇଅଛି। 13ଆମ୍ଭେମାନେ ଯେ ତାହାଙ୍କଠାରେ ଅଛୁ ଓ ସେ ଆମ୍ଭମାନଙ୍କଠାରେ ଅଛନ୍ତି, ଏହା ଆମ୍ଭେମାନେ ଜାଣୁ, କାରଣ ସେ ଆମ୍ଭମାନଙ୍କୁ ଆପଣା ଆତ୍ମାଙ୍କର ସହଭାଗିତା ଦାନ କରିଅଛନ୍ତି। 14ପିତା ଯେ ପୁତ୍ରଙ୍କୁ ଜଗତର ତ୍ରାଣକର୍ତ୍ତା ହେବା ନିମନ୍ତେ ପ୍ରେରଣ କରିଅଛନ୍ତି, ଏହା ଆମ୍ଭେମାନେ ଦେଖିଅଛୁ ଓ ସାକ୍ଷ୍ୟ ଦେଉଅଛୁ। 15ଯେ କେହି ଯୀଶୁଙ୍କୁ ଈଶ୍ବରଙ୍କ ପୁତ୍ର ବୋଲି ସ୍ୱୀକାର କରେ, ଈଶ୍ବର ତାହାଠାରେ ଅଛନ୍ତି ଓ ସେ ଈଶ୍ବରଙ୍କଠାରେ ଅଛି। 16ପୁଣି, ଆମ୍ଭମାନଙ୍କ ପ୍ରତି ଈଶ୍ବରଙ୍କର ଯେଉଁ ପ୍ରେମ ଅଛି, ତାହା ଆମ୍ଭେମାନେ ଜାଣିଅଛୁ ଓ ବିଶ୍ୱାସ କରିଅଛୁ। ଈଶ୍ବର ତ ପ୍ରେମ; ଯେ ପ୍ରେମରେ ରହେ, ସେ ଈଶ୍ବରଙ୍କଠାରେ ରହେ ଓ ଈଶ୍ବର ତାହାଠାରେ ରହନ୍ତି।

ସୁସମାଚାର

ଯୋହ 17:11–19

11ମୁଁ ଆଉ ଏ ଜଗତରେ ରହୁ ନାହିଁ, କିନ୍ତୁ ଏମାନେ ଜଗତରେ ରହୁଅଛନ୍ତି; ପୁଣି, ମୁଁ ତୁମ୍ଭ ନିକଟକୁ ଯାଉଅଛି। ପବିତ୍ର ପିତଃ, ତୁମ୍ଭ ସେହି ନାମରେ ସେମାନଙ୍କୁ ରକ୍ଷା କର ଯେଉଁ ନାମ ତୁମ୍ଭେ ମୋତେ ଦେଇଅଛ, ଯେପରି ଆମ୍ଭେମାନେ ଯେପ୍ରକାର ଏକ, ସେମାନେ ସେପ୍ରକାର ଏକ ହୁଅନ୍ତି। 12ସେମାନଙ୍କ ସହିତ ରହୁଥିବା ସମୟରେ ମୁଁ ସେମାନଙ୍କୁ ତୁମ୍ଭ ସେହି ନାମରେ ରକ୍ଷା କରି ଅାସିଅଛି ଯେଉଁ ନାମ ତୁମ୍ଭେ ମୋତେ ଦେଇଅଛ, ଆଉ ମୁଁ ସେମାନଙ୍କୁ ସାବଧାନରେ ରକ୍ଷା କରିଅଛି ଓ ଧର୍ମଶାସ୍ତ୍ର ଯେପରି ସଫଳ ହୁଏ, ଏଥିନିମନ୍ତେ ବିନାଶର ସନ୍ତାନ ବିନା ସେମାନଙ୍କ ମଧ୍ୟରୁ ଜଣେ କେହି ବିନଷ୍ଟ ହୋଇ ନାହିଁ।” 13“କିନ୍ତୁ ଏବେ ମୁଁ ତୁମ୍ଭ ନିକଟକୁ ଯାଉଅଛି, ଆଉ ସେମାନଙ୍କ ଅନ୍ତରେ ମୋହର ଆନନ୍ଦ ଯେପରି ସମ୍ପୂର୍ଣ୍ଣ ହୁଏ, ସେଥିନିମନ୍ତେ ଜଗତରେ ଥାଉ ଥାଉ ମୁଁ ଏହାସବୁ କହୁଅଛି। 14ମୁଁ ସେମାନଙ୍କୁ ତୁମ୍ଭର ବାକ୍ୟ ଦାନ କରିଅଛି, ଆଉ ଜଗତ ସେମାନଙ୍କୁ ଘୃଣା କରିଅଛି, କାରଣ ମୁଁ ଯେପରି ଏ ଜଗତରୁ ଉତ୍ପନ୍ନ ନୁହେଁ, ସେମାନେ ସେହିପରି ଏହି ଜଗତରୁ ଉତ୍ପନ୍ନ ନୁହଁନ୍ତି। 15ତୁମ୍ଭେ ସେମାନଙ୍କୁ ଜଗତରୁ ଘେନିଯାଅ ବୋଲି ମୁଁ ପ୍ରାର୍ଥନା କରୁ ନାହିଁ, କିନ୍ତୁ ସେମାନଙ୍କୁ ମନ୍ଦରୁ ରକ୍ଷା କର ବୋଲି ପ୍ରାର୍ଥନା କରୁଅଛି। 16ମୁଁ ଯେପରି ଜଗତରୁ ଉତ୍ପନ୍ନ ନୁହେଁ, ସେମାନେ ସେପରି ଜଗତରୁ ଉତ୍ପନ୍ନ ନୁହଁନ୍ତି। 17ସତ୍ୟ ଦ୍ୱାରା ସେମାନଙ୍କୁ ପବିତ୍ର କର, ତୁମ୍ଭର ବାକ୍ୟ ତ ସତ୍ୟ। 18ତୁମ୍ଭେ ମୋତେ ଯେପରି ଜଗତକୁ ପ୍ରେରଣ କରିଅଛ, ମୁଁ ମଧ୍ୟ ସେମାନଙ୍କୁ ସେପରି ଜଗତକୁ ପ୍ରେରଣ କରିଅଛି। 19ଆଉ, ସେମାନେ ସୁଦ୍ଧା ଯେପରି ସତ୍ୟ ଦ୍ୱାରା ପବିତ୍ରୀକୃତ ହୁଅନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ଆପଣାକୁ ପବିତ୍ର କରୁଅଛି।”

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର