ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମଇ 2027 › ମଇ 11
ଅର୍ଥୋଡକ୍ସ ପଞ୍ଜିକା · 28 ଅପ୍ରେଲ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 11 ମଇ 2027
ମଙ୍ଗଳବାର · ପାସ୍କାର ଦ୍ୱିତୀୟ ସପ୍ତାହ · ସ୍ୱର 1
ପର୍ବ ଓ ସନ୍ଥ
ଆନନ୍ଦର ଦିନ (ରାଡୋନିତ୍ସା)
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
1ପିତର ଏବଂ ଯୋହନ ଲୋକମାନଙ୍କ ନିକଟରେ କଥା କହୁଥିବା ସମୟରେ ଯାଜକମାନେ, ମନ୍ଦିର ସେନାପତି ଓ ସାଦ୍ଦୂକୀମାନେ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ; 2ସେମାନେ ବିରକ୍ତ ହୋଇଥିଲେ, କାରଣ ପ୍ରେରିତମାନେ ଲୋକମାନଙ୍କୁ ଶିକ୍ଷା ଦେଉଥିଲେ ଓ ଯୀଶୁଙ୍କ କଥା ଧରି ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ବିଷୟ ପ୍ରଚାର କରୁଥିଲେ। 3ପୁଣି, ସେମାନେ ଶିଷ୍ୟମାନଙ୍କୁ ଧରି ପରଦିନ ପର୍ଯ୍ୟନ୍ତ କାରାଗାରରେ ରଖିଲେ, କାରଣ ସେତେବେଳେ ସନ୍ଧ୍ୟା ହୋଇଥିଲା। 4ତଥାପି ବାକ୍ୟ ଶୁଣିବା ଲୋକମାନଙ୍କ ମଧ୍ୟରୁ ଅନେକେ ବିଶ୍ୱାସ କଲେ, ଆଉ ପୁରୁଷମାନଙ୍କର ସଂଖ୍ୟା ପ୍ରାୟ ପାଞ୍ଚ ହଜାର ହେଲା। 5ପରଦିନ ଲୋକମାନଙ୍କର ଅଧ୍ୟକ୍ଷ, ପ୍ରାଚୀନ ଓ ଶାସ୍ତ୍ରୀମାନେ ଯିରୂଶାଲମ ସହରରେ ଏକତ୍ରିତ ହେଲେ; 6ସେଠାରେ ମହାଯାଜକ ହାନାନ, କୟାଫା, ଯୋହନ, ଆଲେକ୍ଜାଣ୍ଡର, ପୁଣି, ମହାଯାଜକୀୟ ବଂଶର ସମସ୍ତ ଲୋକ ଉପସ୍ଥିତ ଥିଲେ। 7ସେମାନେ ପ୍ରେରିତମାନଙ୍କୁ ମଧ୍ୟ ସ୍ଥାନରେ ଠିଆ କରାଇ ପଚାରିବାକୁ ଲାଗିଲେ, କି ଶକ୍ତିରେ ବା କେଉଁ ନାମରେ ତୁମ୍ଭେମାନେ ଏହା କରିଅଛ? 8ସେଥିରେ ପିତର ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ସେମାନଙ୍କୁ କହିଲେ, ହେ ଲୋକମାନଙ୍କର ଅଧ୍ୟକ୍ଷ ଓ ପ୍ରାଚୀନମାନେ, 9ଆଜି ଯଦି ଜଣେ ରୋଗୀ ପ୍ରତି କରାଯାଇଥିବା ଉତ୍ତମ କାର୍ଯ୍ୟ ବିଷୟରେ ଆମ୍ଭମାନଙ୍କୁ ପଚରାଯାଏ ଯେ, ଏହି ଲୋକ କି ଉପାୟରେ ସୁସ୍ଥ ହୋଇଅଛି? 10ତାହାହେଲେ ଆପଣମାନେ ସମସ୍ତେ ଓ ସମସ୍ତ ଇସ୍ରାଏଲ ଲୋକ ଜ୍ଞାତ ହେଉନ୍ତୁ ଯେ, ଯେଉଁ ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କୁ ଆପଣମାନେ କ୍ରୁଶରେ ବଧ କରିଅଛନ୍ତି, ଯାହାଙ୍କୁ ଈଶ୍ବର ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି, ତାହାଙ୍କ ନାମରେ, ହଁ, ତାହାଙ୍କ ଦ୍ୱାରା ଏହି ଲୋକଟି ସୁସ୍ଥ ହୋଇ ଆପଣମାନଙ୍କ ସାକ୍ଷାତରେ ଠିଆ ହୋଇଅଛି।
ସୁସମାଚାର
16କାରଣ ଈଶ୍ବର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହୁଏ। 17ଯେଣୁ ଜଗତର ବିଚାର କରିବା ନିମନ୍ତେ ଈଶ୍ବର ଆପଣା ପୁତ୍ରଙ୍କୁ ଜଗତକୁ ପ୍ରେରଣ ନ କରି, ଜଗତ ଯେପରି ତାହାଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହୁଏ, ଏଥିପାଇଁ ତାହାଙ୍କୁ ପ୍ରେରଣ କଲେ। 18ଯେ ତାହାଙ୍କଠାରେ ବିଶ୍ୱାସ କରେ, ସେ ବିଚାରିତ ହୁଏ ନାହିଁ; ଯେ ବିଶ୍ୱାସ କରେ ନାହିଁ, ସେ ବିଚାରିତ ହୋଇ ସାରିଲାଣି, କାରଣ ସେ ଈଶ୍ବରଙ୍କ ଅଦ୍ୱିତୀୟ ପୁତ୍ରଙ୍କ ନାମରେ ବିଶ୍ୱାସ କରି ନାହିଁ। 19ଆଉ, ସେହି ବିଚାର ଏହି, ଜଗତରେ ଜ୍ୟୋତିଃ ପ୍ରକାଶିତ ହୋଇଅଛି, ଆଉ ଲୋକମାନେ ଜ୍ୟୋତିଃ ଅପେକ୍ଷା ବରଂ ଅନ୍ଧକାରକୁ ଭଲ ପାଇଲେ, ଯେଣୁ ସେମାନଙ୍କର କର୍ମସବୁ ମନ୍ଦ। 20କାରଣ ଯେ କେହି କୁକର୍ମ କରେ, ଯେ ଜ୍ୟୋତିଃକୁ ଘୃଣା କରେ, ପୁଣି, କାଳେ ତାହାର କର୍ମର ଦୋଷ ପ୍ରକାଶିତ ହୁଏ, ଏଥିପାଇଁ ସେ ଜ୍ୟୋତିଃ ନିକଟକୁ ଆସେ ନାହିଁ। 21କିନ୍ତୁ ଯେ କେହି ସତ୍ୟ ଆଚରଣ କରେ, ସେ ଜ୍ୟୋତିଃ ନିକଟକୁ ଆସେ, ଯେପରି ତାହାର କର୍ମସବୁ ଈଶ୍ବରଙ୍କଠାରେ ସାଧିତ ବୋଲି ପ୍ରକାଶିତ ହୁଏ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅପ୍ରେଲ 28 ନାଗରିକ ପଞ୍ଜିକାର ମଇ 11। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର