ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମଇ 2027 › ମଇ 13
ଅର୍ଥୋଡକ୍ସ ପଞ୍ଜିକା · 30 ଅପ୍ରେଲ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 13 ମଇ 2027
ଗୁରୁବାର · ପାସ୍କାର ଦ୍ୱିତୀୟ ସପ୍ତାହ · ସ୍ୱର 1
ପର୍ବ ଓ ସନ୍ଥ
Holy Apostle James Zebedee, brother of John the Theologian († 44)
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ସନ୍ଧ୍ୟା ପ୍ରାର୍ଥନା: ପାଠ (ସନ୍ଥ ଯାକୁବଙ୍କ ପାଇଁ)
1ଈଶ୍ବରଙ୍କ ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦାସ ଯାକୁବର ଛିନ୍ନଭିନ୍ନ ଦ୍ୱାଦଶ ଗୋଷ୍ଠୀଙ୍କୁ ନମସ୍କାର। 2ହେ ମୋହର ଭାଇମାନେ, ତୁମ୍ଭେମାନେ ଯେତେବେଳେ ନାନା ପ୍ରକାର ପରୀକ୍ଷାରେ ପରୀକ୍ଷିତ ହୁଅ, 3ସେତେବେଳେ ତାହା ବିଶେଷ ଆନନ୍ଦର ବିଷୟ ବୋଲି ମନେ କର; ପରୀକ୍ଷାସିଦ୍ଧ ବିଶ୍ୱାସ ଯେ ସହିଷ୍ଣୁତା ଉତ୍ପନ୍ନ କରେ, ଏହା ତ ଜାଣିଅଛ। 4ଆଉ, ତୁମ୍ଭେମାନେ ଯେପରି କୌଣସି ବିଷୟରେ ଊଣା ନ ପଡ଼ି ସିଦ୍ଧ ଓ ସମ୍ପୂର୍ଣ୍ଣ ହୁଅ, ଏଥିପାଇଁ ସହିଷ୍ଣୁତା ସମ୍ପୂର୍ଣ୍ଣ ରୂପେ କାର୍ଯ୍ୟ ସାଧନ କରୁ। 5କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ଯେବେ କାହାରି ଜ୍ଞାନର ଅଭାବ ଥାଏ, ତେବେ ଯେଉଁ ଈଶ୍ବର ଦୋଷ ନ ଧରି ମୁକ୍ତ ହସ୍ତରେ ସମସ୍ତଙ୍କୁ ଦାନ କରନ୍ତି, ତାହାଙ୍କ ଛାମୁରେ ସେ ପ୍ରାର୍ଥନା କରୁ, ସେଥିରେ ତାହାକୁ ଦିଆଯିବ। 6କିନ୍ତୁ ସେ କିଛିମାତ୍ର ସନ୍ଦେହ ନ କରି ବିଶ୍ୱାସ ସହ ପ୍ରାର୍ଥନା କରୁ, କାରଣ ଯେ ସନ୍ଦେହ କରେ, ସେ ବାୟୁରେ ଇତଃସ୍ତତଃ ଚାଳିତ ସମୁଦ୍ରର ତରଙ୍ଗ ସଦୃଶ। 7ସେପରି ଲୋକ ପ୍ରଭୁଙ୍କଠାରୁ କିଛି ପାଇବ ବୋଲି ମନେ ନ କରୁ; 8ସେ ତ ଦ୍ୱିମନା ଲୋକ, ଆପଣାର ସମସ୍ତ ଗତିରେ ଅସ୍ଥିର। 9ଦୀନ ଅବସ୍ଥାର ଭ୍ରାତା ଆପଣାର ଉନ୍ନତ ଅବସ୍ଥାରେ ଦର୍ପ କରୁ, 10ଧନୀ ଆପଣା ଦୀନାବସ୍ଥାରେ ଦର୍ପ କରୁ, କାରଣ ଘାସର ଫୁଲ ପରି ସେ ଝଡ଼ିପଡ଼ିବ। 11ଯେଣୁ ସୂର୍ଯ୍ୟ ସତାପରେ ଉଦୟ ହୁଅନ୍ତେ, ଘାସ ଯେପରି ଶୁଖିଯାଏ ଓ ତାହାର ଫୁଲ ଝଡ଼ିପଡ଼େ ପୁଣି, ତାହାର ରୂପର ସୌନ୍ଦର୍ଯ୍ୟ ନାଶ ହୁଏ, ସେହିପରି ଧନୀ ଲୋକ ହିଁ ଆପଣାର ସବୁ ଗତିରେ ଝାଉଁଳି ପଡ଼ିବ। 12ଯେଉଁ ଲୋକ ପରୀକ୍ଷା ସହ୍ୟ କରେ, ସେ ଧନ୍ୟ, କାରଣ ପ୍ରଭୁ ଆପଣା ପ୍ରେମ କରୁଥିବା ଲୋକମାନଙ୍କୁ ଯେଉଁ ଜୀବନରୂପ ମୁକୁଟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ପରୀକ୍ଷାସିଦ୍ଧ ହେଲା ଉତ୍ତାରେ ସେହି ଲୋକ ସେହି ମୁକୁଟ ପ୍ରାପ୍ତ କରିବ।
ସନ୍ଧ୍ୟା ପ୍ରାର୍ଥନା: ପାଠ (ସନ୍ଥ ଯାକୁବଙ୍କ ପାଇଁ)
13କେହି ପରୀକ୍ଷିତ ହେଲେ, ମୋହର ଏହି ପରୀକ୍ଷା ଈଶ୍ବରଙ୍କ ଆଡ଼ୁ ହେଉଅଛି ବୋଲି ନ କହୁ, କାରଣ ଈଶ୍ବର ମନ୍ଦରେ ପରୀକ୍ଷିତ ହୋଇପାରନ୍ତି ନାହିଁ, ଆଉ ସେ ନିଜେ କାହାକୁ ପରୀକ୍ଷା କରନ୍ତି ନାହିଁ। 14କିନ୍ତୁ ପ୍ରତ୍ୟେକ ଲୋକ ଆପଣା କାମନା ଦ୍ୱାରା ଆକର୍ଷିତ ଓ ପ୍ରବଞ୍ଚିତ ହୋଇ ପରୀକ୍ଷିତ ହୁଏ; 15ତାହା ପରେ କାମନା ଗର୍ଭଧାରଣ କରି ପାପ ପ୍ରସବ କରେ, ପୁଣି, ପାପ ପୂର୍ଣ୍ଣମାତ୍ରାରେ ବୃଦ୍ଧି ପାଇ ମୃତ୍ୟୁକୁ ଜନ୍ମ ଦିଏ। 16ହେ ମୋହର ପ୍ରିୟ ଭାଇମାନେ, ଭ୍ରାନ୍ତ ହୁଅ ନାହିଁ। 17ସମସ୍ତ ଉତ୍ତମ ଦାନ ଓ ସମସ୍ତ ସିଦ୍ଧ ବର ଊର୍ଦ୍ଧ୍ୱରୁ, ଅର୍ଥାତ୍, ଜ୍ୟୋତିଃର୍ଗଣର ପିତାଙ୍କଠାରୁ ଆସେ, ଯାହାଙ୍କଠାରେ କୌଣସି ପରିବର୍ତ୍ତନ ବା ଲେଶମାତ୍ର ବିକାର ନାହିଁ। 18ଆମ୍ଭେମାନେ ଯେପରି ତାହାଙ୍କ ସୃଷ୍ଟ ବିଷୟମାନଙ୍କ ମଧ୍ୟରୁ ଏକ-ପ୍ରକାର ପ୍ରଥମ ଫଳ ସ୍ୱରୂପ ହେଉ, ଏଥିନିମନ୍ତେ ସେ ଆପଣା ଇଚ୍ଛାନୁସାରେ ସତ୍ୟ ବାକ୍ୟ ଦ୍ୱାରା ଆମ୍ଭମାନଙ୍କୁ ଜନ୍ମ ଦେଲେ। 19ହେ ମୋହର ପ୍ରିୟ ଭାଇମାନେ, ତୁମ୍ଭେମାନେ ଏହା ଜ୍ଞାତ ଅଛ। ପ୍ରତ୍ୟେକ ଜଣ ଶୁଣିବାରେ ତତ୍ପର, କହିବାରେ ଧୀର ପୁଣି, କ୍ରୋଧ କରିବାରେ ଧୀର ହେଉ, 20କାରଣ ମନୁଷ୍ୟର କ୍ରୋଧ ଈଶ୍ବରଙ୍କ ଗ୍ରାହ୍ୟ ଧାର୍ମିକତା ସାଧନ କରେ ନାହିଁ। 21ଅତଏବ, ତୁମ୍ଭେମାନେ ସମସ୍ତ ଅଶୁଚିତା ଓ ସବୁପ୍ରକାର ଦୁଷ୍ଟତା ପରିତ୍ୟାଗ କରି ଯେଉଁ ରୋପିତ ବାକ୍ୟ ତୁମ୍ଭମାନଙ୍କ ଆତ୍ମାକୁ ପରିତ୍ରାଣ କରିବା ନିମନ୍ତେ ସମର୍ଥ, ତାହା ନମ୍ର ଭାବରେ ଗ୍ରହଣ କର। 22କିନ୍ତୁ ଶ୍ରୋତାମାତ୍ର ହୋଇ ଆପଣାମାନଙ୍କୁ ପ୍ରବଞ୍ଚନା ନ କରି ବାକ୍ୟର କର୍ମକାରୀ ହୁଅ। 23କାରଣ ଯଦି କେହି ବାକ୍ୟର କର୍ମକାରୀ ନ ହୋଇ ଶ୍ରୋତାମାତ୍ର ହୁଏ, ତେବେ ସେ ଦର୍ପଣରେ ଆପଣା ସ୍ୱାଭାବିକ ମୁଖ ଦର୍ଶନ କରୁଥିବା ମନୁଷ୍ୟର ତୁଲ୍ୟ, 24ଯେଣୁ ସେ ଆପଣାକୁ ଦେଖିଲା ଉତ୍ତାରେ ଚାଲିଯାଇ, ସେ କି ପ୍ରକାର ଲୋକ, ତାହା ସେହିକ୍ଷଣି ଭୁଲିଯାଏ। 25କିନ୍ତୁ ଯେ ସିଦ୍ଧ, ଅର୍ଥାତ୍, ସ୍ୱାଧୀନତାର ବ୍ୟବସ୍ଥା ପ୍ରତି ନିରୀକ୍ଷଣ କରି ସେଥିରେ ନିବିଷ୍ଟ ଥାଏ, ପୁଣି, ବିସ୍ମରଣକାରୀ ଶ୍ରୋତାମାତ୍ର ନ ହୋଇ ବରଂ କାର୍ଯ୍ୟକାରୀ ହୁଏ, ସେ ଆପଣା କାର୍ଯ୍ୟରେ ଧନ୍ୟ। 26ଯଦି କେହି ଆପଣାକୁ ଧର୍ମପରାୟଣ ବୋଲି ମନେ କରେ, ଆଉ ଆପଣା ଜିହ୍ୱାକୁ ବଶୀଭୂତ ନ କରି ନିଜ ହୃଦୟକୁ ପ୍ରବଞ୍ଚନା କରେ, ତାହାର ଧର୍ମପରାୟଣତା ବୃଥା। 27ଅନାଥ ଓ ବିଧବାମାନଙ୍କୁ ସେମାନଙ୍କ ଦୁଃଖାବସ୍ଥାରେ ସଂଖୋଳିବା ପୁଣି, ସଂସାରରୁ ଆପଣାକୁ ନିଷ୍କଳଙ୍କ ରୂପେ ରକ୍ଷା କରିବା, ଏହା ଆମ୍ଭମାନଙ୍କ ଈଶ୍ବର ଓ ପିତାଙ୍କ ଛାମୁରେ ବିଶୁଦ୍ଧ ଓ ନିର୍ମଳ ଧର୍ମପରାୟଣତା ଅଟେ।
ସନ୍ଧ୍ୟା ପ୍ରାର୍ଥନା: ପାଠ (ସନ୍ଥ ଯାକୁବଙ୍କ ପାଇଁ)
1ହେ ମୋହର ଭାଇମାନେ, ଆମ୍ଭମାନଙ୍କ ଗୌରବମୟ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବାରୁ ମନୁଷ୍ୟର ମୁଖାପେକ୍ଷା କର ନାହିଁ। 2କାରଣ ଯଦି ସୁବର୍ଣ୍ଣ ମୁଦ୍ରିକା ଓ ଚାକଚକ୍ୟ ବସ୍ତ୍ର ପରିଧାନ କରି କୌଣସି ଲୋକ ତୁମ୍ଭମାନଙ୍କ ସଭାକୁ ଆସେ, ପୁଣି, ଜଣେ ଦରିଦ୍ର ଲୋକ ମଳିନ ବସ୍ତ୍ର ପରିଧାନ କରି ଆସେ, 3ଆଉ, ତୁମ୍ଭେମାନେ ଚାକଚକ୍ୟ ବସ୍ତ୍ର ପରିଧାନ କରିଥିବା ଲୋକକୁ ମର୍ଯ୍ୟାଦା କରି କୁହ, ଏଠାରେ ଉତ୍ତମ ସ୍ଥାନରେ ବସନ୍ତୁ, ଆଉ ଦରିଦ୍ର ଲୋକକୁ କୁହ, ସେଠାରେ ଠିଆ ହୁଅ, 4କିମ୍ବା ମୋହର ଗୋଡ଼ ତଳେ ବସ, ତାହାହେଲେ ତୁମ୍ଭେମାନେ କଅଣ ଆପଣା ଆପଣା ମଧ୍ୟରେ ଭେଦାଭେଦ ରଖି ବିପରୀତ ବ୍ୟବହାର ଏବଂ ମନ୍ଦ ଭାବରେ ବିଚାର କରୁ ନାହଁ? 5ହେ ମୋହର ପ୍ରିୟ ଭାଇମାନେ, ଶୁଣ, ଈଶ୍ବର କଅଣ ଏହି ଜଗତର ଦୃଷ୍ଟିରେ ଦରିଦ୍ରମାନଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବା ପାଇଁ, ପୁଣି, ଆପଣା ପ୍ରେମକାରୀମାନଙ୍କୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ସେଥିର ଅଧିକାରୀ ହେବା ପାଇଁ ମନୋନୀତ କରି ନାହାନ୍ତି? 6କିନ୍ତୁ ତୁମ୍ଭେମାନେ ଦରିଦ୍ରକୁ ହତାଦର କରିଅଛ। ଧନୀମାନେ କଅଣ ତୁମ୍ଭମାନଙ୍କ ପ୍ରତି ଉପଦ୍ରବ କରନ୍ତି ନାହିଁ ଏବଂ ତୁମ୍ଭମାନଙ୍କୁ ବିଚାର-ସ୍ଥାନକୁ ଟାଣିନିଅନ୍ତି ନାହିଁ? 7ଯେଉଁ ମହତ ନାମରେ ତୁମ୍ଭେମାନେ ଖ୍ୟାତ ସେମାନେ କଅଣ ସେହି ନାମର ନିନ୍ଦା କରନ୍ତି ନାହିଁ? 8ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର, ଶାସ୍ତ୍ରର ଏହି ରାଜକୀୟ ବ୍ୟବସ୍ଥା ଯଦି ପ୍ରକୃତରେ ପାଳନ କର, 9ତାହାହେଲେ ଭଲ କରିଥାଅ; କିନ୍ତୁ ଯଦି ମନୁଷ୍ୟର ମୁଖାପେକ୍ଷା କର, ତାହାହେଲେ ପାପ କରୁଅଛ, ପୁଣି, ସେହି ବ୍ୟବସ୍ଥା ଦ୍ୱାରା ଦୋଷୀ ବୋଲି ପ୍ରମାଣିତ ହୋଇଥାଅ। 10କାରଣ ଯେ କେହି ସମସ୍ତ ବ୍ୟବସ୍ଥା ପାଳନ କରି କେବଳ ଗୋଟିକ ବିଷୟରେ ଝୁଣ୍ଟିପଡ଼େ, ତେବେ ସେ ସମସ୍ତ ବ୍ୟବସ୍ଥା ଲଙ୍ଘନ ଦୋଷରେ ଦଣ୍ଡନୀୟ ହୁଏ। 11ଯେଣୁ ଯେ ବ୍ୟଭିଚାର କର ନାହିଁ ବୋଲି କହିଥିଲେ, ସେ ନରହତ୍ୟା କର ନାହିଁ ବୋଲି ମଧ୍ୟ କହିଥିଲେ, ଏଣୁ ତୁମ୍ଭେ ଯଦି ବ୍ୟଭିଚାର ନ କରି ନରହତ୍ୟା କର, ତେବେ ବ୍ୟବସ୍ଥା ଲଙ୍ଘନକାରୀ ହୋଇଅଛ। 12ସ୍ୱାଧୀନତାର ବ୍ୟବସ୍ଥା ଦ୍ୱାରା ଯେ ତୁମ୍ଭେମାନେ ବିଚାରିତ ହେବ, ଏହା ଜାଣି ସେହି ପ୍ରକାର କଥା କୁହ ଓ କାର୍ଯ୍ୟ କର। 13କାରଣ ଯେ ଦୟା କରେ ନାହିଁ, ସେ ନିର୍ଦ୍ଦୟ ରୂପେ ବିଚାରିତ ହେବ, ଦୟା ବିଚାର ଉପରେ ଜୟଧ୍ୱନି କରେ।
ପ୍ରଭାତୀ ପ୍ରାର୍ଥନା: ସୁସମାଚାର
15ସେମାନେ ଭୋଜନ କଲା ଉତ୍ତାରେ ଯୀଶୁ ଶିମୋନ ପିତରଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ଏମାନଙ୍କଠାରୁ ଅଧିକ ପ୍ରେମ କରୁଅଛ?” ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ସେ ତାହାଙ୍କୁ କହିଲେ, “ମୋହର ମେଷଶାବକମାନଙ୍କୁ ଚରାଅ।” 16ସେ ପୁନର୍ବାର ଦ୍ୱିତୀୟ ଥର ତାହାଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ପ୍ରେମ କରୁଅଛ?” ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ସେ ତାହାଙ୍କୁ କହିଲେ, “ମୋହର ମେଷମାନଙ୍କୁ ପ୍ରତିପାଳନ କର।” 17ସେ ତୃତୀୟ ଥର ତାହାଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ? ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ,” ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ଯୀଶୁ ତାହାଙ୍କୁ କହିଲେ, “ମୋହର ମେଷମାନଙ୍କୁ ଚରାଅ। 18ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଯୁବକ ଥିବା ସମୟରେ ତୁମ୍ଭେ ଆପଣା କଟି ବନ୍ଧନ କରି ଯେଉଁ ଆଡ଼େ ଇଚ୍ଛା, ସେହି ଆଡ଼େ ଭ୍ରମଣ କରୁଥିଲ, କିନ୍ତୁ ବୃଦ୍ଧ ହେଲେ ତୁମ୍ଭେ ଆପଣା ହସ୍ତ ବିସ୍ତାର କରିବ ଓ ଅନ୍ୟ ଜଣେ ତୁମ୍ଭର କଟି ବନ୍ଧନ କରି, ଯେଉଁ ଆଡ଼େ ତୁମ୍ଭର ଇଚ୍ଛା ନ ଥିବ, ସେଆଡ଼େ ତୁମ୍ଭକୁ ଘେନିଯିବ।” 19ସେ କେଉଁ ପ୍ରକାର ମୃତ୍ୟୁଭୋଗ ଦ୍ୱାରା ଈଶ୍ବରଙ୍କୁ ଗୌରବାନ୍ୱିତ କରିବେ, ସେଥିର ସୂଚନା ଦେଇ ସେ ଏହା କହିଲେ। ଏହା କହିଲା ଉତ୍ତାରେ ସେ ତାହାଙ୍କୁ କହିଲେ, “ମୋହର ଅନୁଗାମୀ ହୁଅ।” 20ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ ଓ ଯେ ମଧ୍ୟ ରାତ୍ରିଭୋଜ ସମୟରେ ତାହାଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି, ପ୍ରଭୁ, ଆପଣଙ୍କୁ କିଏ ଶତ୍ରୁ ହସ୍ତରେ ସମର୍ପଣ କରିବ ବୋଲି ପଚାରିଥିଲେ, ସେହି ଶିଷ୍ୟଙ୍କୁ ପିତର ବୁଲିପଡ଼ି ପଛରେ ଆସୁଥିବା ଦେଖିଲେ। 21ପିତର ତାହାଙ୍କୁ ଦେଖି ଯୀଶୁଙ୍କୁ ପଚାରିଲେ, ପ୍ରଭୁ, ଏହାର ବିଷୟରେ କଅଣ? 22ଯୀଶୁ ତାହାଙ୍କୁ କହିଲେ, “ମୋହର ଆଗମନ ପର୍ଯ୍ୟନ୍ତ ସେ ରହୁ ବୋଲି ଯଦି ମୁଁ ଇଚ୍ଛା କରେ, ତାହାହେଲେ ସେଥିରେ ତୁମ୍ଭର କଅଣ ଅଛି? ତୁମ୍ଭେ ମୋହର ଅନୁଗାମୀ ହୁଅ।” 23ସେଥିରେ ସେହି ଶିଷ୍ୟ ଯେ ମରିବ ନାହିଁ, ଭାଇମାନଙ୍କ ମଧ୍ୟରେ ଏହି କଥା ବ୍ୟାପିଗଲା, ମାତ୍ର ସେ ମରିବ ନାହିଁ ବୋଲି ଯୀଶୁ ତାହାଙ୍କୁ କହି ନ ଥିଲେ, “କିନ୍ତୁ ମୋହର ଆଗମନ ପର୍ଯ୍ୟନ୍ତ ସେ ରହୁ ବୋଲି ଯଦି ମୁଁ ଇଚ୍ଛା କରେ, ତାହାହେଲେ ସେଥିରେ ତୁମ୍ଭର କଅଣ ଅଛି” ବୋଲି କହିଥିଲେ। 24ଯେ ଏହି ସମସ୍ତ ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି ଓ ଏହି ସମସ୍ତ ଲେଖିଅଛନ୍ତି, ସେ ସେହି ଶିଷ୍ୟ; ଆଉ, ତାହାଙ୍କ ସାକ୍ଷ୍ୟ ଯେ ସତ୍ୟ, ତାହା ଆମ୍ଭେମାନେ ଜାଣୁ। 25ପୁଣି, ଯୀଶୁ ଆହୁରି ଅନେକ ଅନେକ କର୍ମ ମଧ୍ୟ କରିଥିଲେ; ସେହିସବୁ ଯଦି ଗୋଟି ଗୋଟି କରି ଲେଖା ଯାଆନ୍ତା, ତାହାହେଲେ ଏତେ ପୁସ୍ତକ ଲେଖା ହୁଅନ୍ତା ଯେ, ମୋହର ବିଚାରରେ ସମୁଦାୟ ଜଗତରେ ସୁଦ୍ଧା ସେହିସବୁ ରଖିବା ନିମନ୍ତେ ସ୍ଥାନ ହୁଅନ୍ତା ନାହିଁ।
ପତ୍ର
23ଶିଷ୍ୟମାନେ ମୁକ୍ତ ହୋଇ ଆପଣା ସଙ୍ଗୀମାନଙ୍କ ନିକଟକୁ ଗଲେ ଏବଂ ପ୍ରଧାନ ଯାଜକ ଓ ପ୍ରାଚୀନମାନେ ସେମାନଙ୍କୁ ଯାହା ଯାହା କହିଥିଲେ, ସେହିସବୁ ଜଣାଇଲେ। 24ସେମାନେ ତାହା ଶୁଣି ଏକଚିତ୍ତରେ ଈଶ୍ବରଙ୍କ ନିକଟରେ ଉଚ୍ଚସ୍ୱରରେ ପ୍ରାର୍ଥନା କରି କହିଲେ, ହେ ପ୍ରଭୁ ତୁମ୍ଭେ ଆକାଶ, ପୃଥିବୀ, ସମୁଦ୍ର ଏବଂ ସେ ସବୁ ମଧ୍ୟରେ ଥିବା ସମସ୍ତ ବିଷୟ ସୃଷ୍ଟି କରିଅଛ। 25ତୁମ୍ଭେ ଆପଣା ଦାସ ଆମ୍ଭମାନଙ୍କ ପିତା ଦାଉଦଙ୍କ ମୁଖ ଦେଇ ପବିତ୍ର ଆତ୍ମାଙ୍କ ଦ୍ୱାରା ଏହି କଥା କହିଅଛ, “‘ଅଣଯିହୁଦୀମାନେ କାହିଁକି କଳହ କଲେ, ଆଉ ଲୋକମାନେ କାହିଁକି ଅନର୍ଥକ ବିଷୟ କଳ୍ପନା କଲେ? 26ପ୍ରଭୁଙ୍କ ବିରୁଦ୍ଧରେ ଓ ତାହାଙ୍କ ଅଭିଷିକ୍ତଙ୍କ ବିରୁଦ୍ଧରେ, ପୃଥିବୀର ରାଜାମାନେ ଠିଆ ହେଲେ, ପୁଣି, ଶାସନକର୍ତ୍ତାମାନେ ଏକତ୍ର ହେଲେ।’ 27କାରଣ ତୁମ୍ଭର ଯେଉଁ ପବିତ୍ର ଦାସ ଯୀଶୁଙ୍କୁ ତୁମ୍ଭେ ଅଭିଷିକ୍ତ କଲ, ପ୍ରକୃତରେ ତାହାଙ୍କ ବିରୁଦ୍ଧରେ ହେରୋଦ ଏବଂ ପନ୍ତିୟ ପୀଲାତ ଉଭୟ ଅଣଯିହୁଦୀ ଓ ଇସ୍ରାଏଲ ଲୋକମାନଙ୍କ ସହିତ ଏହି ନଗରରେ, 28ତୁମ୍ଭର ସଂକଳ୍ପ ଦ୍ୱାରା ଯେ ସମସ୍ତ ବିଷୟ ଘଟିବ ବୋଲି ପୂର୍ବରୁ ନିରୂପିତ ହୋଇଥିଲା, ତାହା କରିବାକୁ ଏକତ୍ର ହେଲେ। 29ଆଉ ଏବେ, ହେ ପ୍ରଭୁ, ସେମାନଙ୍କ ତର୍ଜନଗର୍ଜନ ପ୍ରତି ଦୃଷ୍ଟିପାତ କର; ପୁଣି, ତୁମ୍ଭର ଦାସମାନଙ୍କୁ ପୂର୍ଣ୍ଣ ସାହସ ସହ ତୁମ୍ଭର ବାକ୍ୟ କହିବାକୁ ଶକ୍ତି ଦିଅ, 30ଆଉ ସେଥି ସଙ୍ଗେ ସଙ୍ଗେ ତୁମ୍ଭର ପବିତ୍ର ଦାସ ଯୀଶୁଙ୍କ ନାମରେ ସୁସ୍ଥ କରିବା ନିମନ୍ତେ ଏବଂ ଲକ୍ଷଣ ଓ ଅଦ୍ଭୁତ କର୍ମମାନ ସାଧନ କରିବା ପାଇଁ ତୁମ୍ଭର ହସ୍ତ ବିସ୍ତାର କର।” 31ସେମାନେ ପ୍ରାର୍ଥନା କଲା ଉତ୍ତାରେ, ଯେଉଁ ସ୍ଥାନରେ ଏକତ୍ର ହୋଇଥିଲେ, ତାହା କମ୍ପି ଉଠିଲା, ପୁଣି, ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ ହୋଇ, ସାହସରେ ଈଶ୍ବରଙ୍କ ବାକ୍ୟ କହିବାକୁ ଲାଗିଲେ।
ପତ୍ର (ସନ୍ଥ ଯାକୁବଙ୍କ ପାଇଁ)
1ପ୍ରାୟ ସେହି ସମୟରେ ହେରୋଦ ରାଜା ମଣ୍ଡଳୀର କେତେକ ଜଣଙ୍କୁ ଅତ୍ୟାଚାର କରିବା ନିମନ୍ତେ ହସ୍ତକ୍ଷେପ କଲେ। 2ସେ ଯୋହନଙ୍କ ଭାଇ ଯାକୁବଙ୍କୁ ଖଡ୍ଗରେ ବଧ କଲେ। 3ଆଉ ଯିହୁଦୀ ନେତାମାନଙ୍କୁ ସେଥିରେ ସନ୍ତୁଷ୍ଟ ହେବାର ଦେଖି ସେ ପିତରଙ୍କୁ ମଧ୍ୟ ଧରିବାକୁ ଅଗ୍ରସର ହେଲେ। ସେହି ସମୟରେ ଖମୀରଶୂନ୍ୟ ରୁଟିର ପର୍ବ ଥିଲା। 4ପରେ ସେ ତାହାଙ୍କୁ ଧରି କାରାଗାରରେ ନିକ୍ଷେପ କଲେ, ପୁଣି, ନିସ୍ତାର ପର୍ବ ଉତ୍ତାରେ ସେ ତାହାଙ୍କୁ ଲୋକମାନଙ୍କ ନିକଟକୁ ବାହାର କରି ଆଣିବା ନିମନ୍ତେ ମନସ୍ଥ କରି ପ୍ରତ୍ୟେକ ଦଳରେ ଚାରି ଜଣ ଲେଖାଏଁ ଥିବା ଚାରୋଟି ସେନାଦଳ ନିକଟରେ ତାହାଙ୍କୁ ଜଗିବା ପାଇଁ ସମର୍ପଣ କଲେ। 5ଅତଏବ ପିତର କାରାଗାରରେ ରୁଦ୍ଧ ହୋଇ ରହିଲେ, କିନ୍ତୁ ତାହାଙ୍କ ନିମନ୍ତେ ମଣ୍ଡଳୀ ଦ୍ୱାରା ଏକାଗ୍ରଭାବେ ଈଶ୍ବରଙ୍କ ଛାମୁରେ ପ୍ରାର୍ଥନା କରାଯାଉଥିଲା। 6ପରେ ହେରୋଦ ଯେଉଁ ଦିନ ପିତରଙ୍କୁ ବାହାର କରି ଆଣିବା ପାଇଁ ଯାଉଥିଲେ, ସେହି ରାତିରେ ସେ ଦୁଇଟା ଜଞ୍ଜିରରେ ବନ୍ଧା ହୋଇ ଦୁଇ ଜଣ ସୈନ୍ୟଙ୍କ ମଧ୍ୟରେ ଶୋଇଥିଲେ, ଆଉ ପ୍ରହରୀମାନେ ଦ୍ୱାର ସମ୍ମୁଖରେ କାରାଗାର ରକ୍ଷା କରୁଥିଲେ। 7ଆଉ ଦେଖ, ପ୍ରଭୁଙ୍କର ଜଣେ ଦୂତ ଉପସ୍ଥିତ ହେଲେ, ପୁଣି, କୋଠରୀଟି ଆଲୋକମୟ ହେଲା, ଆଉ ସେ ପିତରଙ୍କ କକ୍ଷଦେଶରେ ଆଘାତ କରି ତାହାଙ୍କୁ ଉଠାଇ କହିଲେ, ଶୀଘ୍ର ଉଠ। ସେଥିରେ ତାହାଙ୍କ ହାତରୁ ଜଞ୍ଜିର ଖସିପଡ଼ିଲା। 8ପୁଣି, ଦୂତ ତାହାଙ୍କୁ କହିଲେ, କଟି ବନ୍ଧନ କର ଓ ପାଦୁକା ପିନ୍ଧ। ସେ ସେପରି କଲେ। ଆଉ ସେ ତାହାଙ୍କୁ କହିଲେ, ଆପଣା ବସ୍ତ୍ର ପିନ୍ଧି ମୋହର ପଛେ ପଛେ ଆସ। 9ସେ ବାହାରି ତାହାଙ୍କ ପଛେ ପଛେ ଗଲେ; କିନ୍ତୁ ଦୂତଙ୍କ ଦ୍ୱାରା ଯାହା କରାଗଲା, ତାହା ଯେ ପ୍ରକୃତ, ସେ ତାହା ନ ବୁଝି ଦର୍ଶନ ଦେଖୁଅଛନ୍ତି ବୋଲି ମନେ କରୁଥିଲେ। 10ଯେତେବେଳେ ସେମାନେ ପ୍ରଥମ ଓ ଦ୍ୱିତୀୟ ପ୍ରହରୀ-ଦଳ ଅତିକ୍ରମ କରି, ଯେଉଁ ଲୌହଦ୍ୱାର ଦେଇ ନଗରକୁ ଯିବାକୁ ହୁଏ, ତାହା ନିକଟକୁ ଆସିଲେ, ସେତେବେଳେ ସେହି ଦ୍ୱାର ଆପଣା ମନକୁ ସେମାନଙ୍କ ନିମନ୍ତେ ମେଲା ହୋଇଗଲା, ଆଉ ସେମାନେ ବାହାରିଯାଇ ଗୋଟିଏ ଦାଣ୍ଡର ଶେଷ ମୁଣ୍ଡ ଯାଏ ଗଲେ, ପୁଣି, ସେହିକ୍ଷଣି ସେହି ଦୂତ ତାହାଙ୍କଠାରୁ ଅଦୃଶ୍ୟ ହୋଇଗଲେ। 11ସେତେବେଳେ ପିତର ସଚେତନ ହୋଇ କହିଲେ, ପ୍ରଭୁ ଯେ ଆପଣା ଦୂତଙ୍କୁ ପଠାଇ ହେରୋଦଙ୍କ ହସ୍ତରୁ ଓ ଯିହୁଦୀ ଲୋକମାନଙ୍କ ସମସ୍ତ ଆକାଂକ୍ଷାରୁ ମୋତେ ଉଦ୍ଧାର କରିଅଛନ୍ତି, ଏହା ମୁଁ ଏବେ ନିଶ୍ଚୟ ଜାଣିଲି।
ସୁସମାଚାର
24ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ପୁଣି, ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି। 25ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ସମୟରେ ମୃତମାନେ ଈଶ୍ବରଙ୍କ ପୁତ୍ରଙ୍କ ସ୍ୱର ଶୁଣିବେ ଓ ଯେଉଁମାନେ ଶୁଣିବେ, ସେମାନେ ଜୀବିତ ହେବେ ଏପରି ସମୟ ଆସୁଅଛି, ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ। 26କାରଣ ପିତା ଯେପରି ସ୍ୱୟଂଜୀବୀ, ସେହିପରି ସେ ପୁତ୍ରଙ୍କୁ ମଧ୍ୟ ସ୍ୱୟଂଜୀବୀ ହେବାକୁ ଦେଇଅଛନ୍ତି; 27ଆଉ, ସେ ମନୁଷ୍ୟପୁତ୍ର ହେବାରୁ ସେ ତାହାଙ୍କୁ ବିଚାର କରିବାର ଅଧିକାର ଦେଲେ। 28ଏଥିରେ ଚମତ୍କୃତ ହୁଅ ନାହିଁ, କାରଣ ଯେଉଁ ସମୟରେ ସମାଧିସ୍ଥ ସମସ୍ତେ ତାହାଙ୍କ ସ୍ୱର ଶୁଣିବେ ଏବଂ ଯେଉଁମାନେ ସତ୍କର୍ମ କରିଅଛନ୍ତି, 29ସେମାନେ ଜୀବନର ପୁନରୁତ୍ଥାନ ନିମନ୍ତେ ଓ ଯେଉଁମାନେ ଅସତ୍ କର୍ମ କରିଅଛନ୍ତି, ସେମାନେ ଦଣ୍ଡର ପୁନରୁତ୍ଥାନ ନିମନ୍ତେ ବାହାର ହୋଇ ଆସିବେ, ଏପରି ସମୟ ଆସୁଅଛି।” 30“ମୁଁ ନିଜେ କିଛି କରିପାରେ ନାହିଁ; ମୁଁ ଯେପରି ଶୁଣେ, ସେହିପରି ବିଚାର କରେ, ଆଉ ମୋହର ବିଚାର ଯଥାର୍ଥ, କାରଣ ମୁଁ ଆପଣାର ଇଚ୍ଛା ସାଧନ କରିବାକୁ ଚେଷ୍ଟା ନ କରି ମୋହର ପ୍ରେରଣକର୍ତ୍ତାଙ୍କର ଇଚ୍ଛା ସାଧନ କରିବାକୁ ଚେଷ୍ଟା କରେ।
ସୁସମାଚାର (ସନ୍ଥ ଯାକୁବଙ୍କ ପାଇଁ)
1ଦିନେ ଯେତେବେଳେ ଲୋକସମୂହ ଯୀଶୁଙ୍କ ଉପରେ ମାଡ଼ିପଡ଼ି ଈଶ୍ବରଙ୍କ ବାକ୍ୟ ଶୁଣୁଥିଲେ, ସେତେବେଳେ ସେ ଗିନ୍ନେସରତ ହ୍ରଦ କୂଳରେ ଠିଆ ହୋଇଥିଲେ; 2ଆଉ ସେ ହ୍ରଦ କୂଳରେ ଦୁଇଟି ନୌକା ଥିବାର ଦେଖିଲେ; ମାଛୁଆମାନେ ସେଥିରୁ ଓହ୍ଲାଇ ଜାଲ ଧୋଉଥିଲେ। 3ସେହି ନୌକାଗୁଡ଼ିକ ମଧ୍ୟରୁ ଯାହା ଶିମୋନଙ୍କର ଥିଲା, ସେଥିରେ ସେ ଚଢ଼ି ସ୍ଥଳରୁ ଅଳ୍ପ ଦୂରକୁ ଯିବା ନିମନ୍ତେ ତାହାଙ୍କୁ ଅନୁରୋଧ କଲେ; ଆଉ, ସେ ବସି ନୌକାରୁ ଲୋକସମୂହକୁ ଶିକ୍ଷା ଦେବାକୁ ଲାଗିଲେ। 4ସେ କଥା ଶେଷ କରି ଶିମୋନଙ୍କୁ କହିଲେ, “ଗଭୀର ଜଳକୁ ଯାଇ ମାଛ ଧରିବା ନିମନ୍ତେ ତୁମ୍ଭମାନଙ୍କର ଜାଲ ପକାଅ।” 5ଏଥିରେ ଶିମୋନ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ରାତିଯାକ ପରିଶ୍ରମ କରି କିଛି ଧରି ନାହୁଁ; କିନ୍ତୁ ଆପଣଙ୍କ କଥାରେ ମୁଁ ଜାଲ ପକାଇବି। 6ଆଉ, ସେମାନେ ତାହା ପକାଇ ବହୁତ ମାଛ ଧରିଲେ, ପୁଣି, ସେମାନଙ୍କ ଜାଲ ଛିଣ୍ଡିବାକୁ ଲାଗିଲା। 7ସେଥିରେ ସେମାନଙ୍କର ଯେଉଁ ସହକର୍ମୀମାନେ ଅନ୍ୟ ନୌକାରେ ଥିଲେ, ସେମାନେ ଯେପରି ଆସି ସାହାଯ୍ୟ କରନ୍ତି, ଏଥିପାଇଁ ସେମାନେ ସେମାନଙ୍କୁ ଠାରିଲେ। ଏଥିରେ ସେମାନେ ଆସି ଦୁଇଟି ନୌକାକୁ ଏପରି ପୂର୍ଣ୍ଣ କଲେ ଯେ, ସେଗୁଡ଼ିକ ବୁଡ଼ିବାକୁ ଲାଗିଲା। 8କିନ୍ତୁ ଶିମୋନ ପିତର ଏହା ଦେଖି ଯୀଶୁଙ୍କ ଚରଣ ତଳେ ପଡ଼ି କହିଲେ, ହେ ପ୍ରଭୁ, ମୋ ନିକଟରୁ ଚାଲିଯାଅ, ଯେଣୁ ମୁଁ ଜଣେ ପାପୀ ମନୁଷ୍ୟ। 9କାରଣ ସେମାନେ ଏତେ ମାଛ ଧରିଥିଲେ ଯେ, ତାହା ଦେଖି ସେ ଓ ତାହାଙ୍କ ସଙ୍ଗୀ ସମସ୍ତେ ଆଶ୍ଚର୍ଯ୍ୟ ହେଲେ; 10ପୁଣି, ଜେବଦୀଙ୍କ ଦୁଇ ପୁତ୍ର ଯାକୁବ ଓ ଯୋହନ, ଯେଉଁମାନେ ଶିମୋନଙ୍କର ସହଭାଗୀ ଥିଲେ, ସେମାନେ ମଧ୍ୟ ସେହି ପ୍ରକାର ଆଶ୍ଚର୍ଯ୍ୟାନ୍ୱିତ ହେଲେ। ପୁଣି, ଯୀଶୁ ଶିମୋନଙ୍କୁ କହିଲେ, “ଭୟ କର ନାହିଁ, ଆଜିଠାରୁ ତୁମ୍ଭେ ମନୁଷ୍ୟମାନଙ୍କୁ ଧରିବ।” 11ସେଥିରେ ସେମାନେ ନୌକାଗୁଡ଼ିକ କୂଳକୁ ଆଣି ସବୁ ଛାଡ଼ିଦେଇ ତାହାଙ୍କର ଅନୁଗମନ କଲେ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅପ୍ରେଲ 30 ନାଗରିକ ପଞ୍ଜିକାର ମଇ 13। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର