Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମଇ 2027 › ମଇ 21

ଅର୍ଥୋଡକ୍ସ ପଞ୍ଜିକା · 8 ମଇ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 21 ମଇ 2027

ଶୁକ୍ରବାର · ପାସ୍କାର ତୃତୀୟ ସପ୍ତାହ · ସ୍ୱର 2

ପର୍ବ ଓ ସନ୍ଥ

Holy Apostle and Evangelist John the Theologian († 98-117)

ଉପବାସ ଦିନ

ମାଛ ଚଳିବ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ସନ୍ଧ୍ୟା ପ୍ରାର୍ଥନା: ପାଠ

ପ୍ର. ଯୋହ 3:21–4:6

21ହେ ପ୍ରିୟମାନେ, ଆମ୍ଭମାନଙ୍କ ହୃଦୟ ଯଦି ଆମ୍ଭମାନଙ୍କୁ ଦୋଷୀ ନ କରେ, ତାହାହେଲେ ଈଶ୍ବରଙ୍କ ଛାମୁରେ ଆମ୍ଭମାନଙ୍କର ସାହସ ଅଛି, 22ପୁଣି, ଆମ୍ଭେମାନେ ଯାହା ଯାହା ମାଗୁ, ସେହିସବୁ ତାହାଙ୍କଠାରୁ ପାଇଥାଉ, କାରଣ ଆମ୍ଭେମାନେ ତାହାଙ୍କର ଆଜ୍ଞା ପାଳନ କରୁ, ପୁଣି, ତାହାଙ୍କର ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା କରିଥାଉ। 23ତାହାଙ୍କର ଆଜ୍ଞା ଏହି ଯେ, ଆମ୍ଭେମାନେ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବିଶ୍ୱାସ କରିବା ଓ ତାହାଙ୍କ ଦତ୍ତ ଆଜ୍ଞାନୁସାରେ ପରସ୍ପରକୁ ପ୍ରେମ କରିବା। 24ଯେ ତାହାଙ୍କ ଆଜ୍ଞା ପାଳନ କରେ, ସେ ତାହାଙ୍କଠାରେ ରହେ ଓ ସେ ତାହାଠାରେ ରହନ୍ତି; ଆଉ ସେ ଯେ ଆମ୍ଭମାନଙ୍କଠାରେ ରହନ୍ତି, ଏହା ଆମ୍ଭେମାନେ ତାହାଙ୍କ ଦତ୍ତ ପବିତ୍ର ଆତ୍ମାଙ୍କ ଦ୍ୱାରା ଜାଣୁଅଛୁ। 4:1ହେ ପ୍ରିୟମାନେ, ପ୍ରତ୍ୟେକ ଆତ୍ମାଙ୍କୁ ବିଶ୍ୱାସ କର ନାହିଁ, ବରଂ ଆତ୍ମାମାନେ ଈଶ୍ବରଙ୍କଠାରୁ ଆଗତ କି ନାହିଁ, ଏହା ସେମାନଙ୍କୁ ପରୀକ୍ଷା କରି ଦେଖ, କାରଣ ଜଗତରେ ଅନେକ ଭଣ୍ଡ ଭାବବାଦୀ ବାହାରି ଅଛନ୍ତି। 2ଏହା ଦ୍ୱାରା ତୁମ୍ଭେମାନେ ଈଶ୍ବରଙ୍କ ଆତ୍ମାଙ୍କୁ ଚିହ୍ନି ପାରିବ, ଯୀଶୁ ଖ୍ରୀଷ୍ଟ ଯେ ଦେହବନ୍ତ ହୋଇ ଆସିଅଛନ୍ତି, ଏହା ଯେକୌଣସି ଆତ୍ମା ସ୍ୱୀକାର କରେ, ସେ ଈଶ୍ବରଙ୍କଠାରୁ ଆଗତ, 3ଆଉ ଯେକୌଣସି ଆତ୍ମା ଯୀଶୁଙ୍କୁ ସ୍ୱୀକାର ନ କରେ, ସେ ଈଶ୍ବରଙ୍କଠାରୁ ଆଗତ ନୁହେଁ; ଏହା ଭଣ୍ଡଖ୍ରୀଷ୍ଟର ଆତ୍ମା, ଯାହାର ଆଗମନ କଥା ତୁମ୍ଭେମାନେ ଶୁଣିଅଛ, ପୁଣି, ତାହା ଏବେ ହେଁ ଜଗତରେ ଉପସ୍ଥିତ ହୋଇଅଛି। 4ହେ ବତ୍ସଗଣ, ତୁମ୍ଭେମାନେ ଈଶ୍ବରଙ୍କଠାରୁ ଜାତ, ଆଉ ତୁମ୍ଭେମାନେ ସେମାନଙ୍କୁ ଜୟ କରିଅଛ, କାରଣ ତୁମ୍ଭମାନଙ୍କଠାରେ ଯେ ଅଛନ୍ତି, ସେ, ଜଗତରେ ଯେ ଅଛି, ତାହାଠାରୁ ମହାନ। 5ସେମାନେ ଜଗତରୁ ଉତ୍ପନ୍ନ, ଅତଏବ ସେମାନେ ଜାଗତିକ କଥା କହନ୍ତି, ଆଉ ଜଗତ ସେମାନଙ୍କ କଥା ଶୁଣେ। 6କିନ୍ତୁ ଆମ୍ଭେମାନେ ଈଶ୍ବରଙ୍କଠାରୁ ଜାତ; ଯେ ଈଶ୍ବରଙ୍କୁ ଜାଣେ, ସେ ଆମ୍ଭମାନଙ୍କ କଥା ଶୁଣେ; ଯେ ଈଶ୍ବରଙ୍କଠାରୁ ଜାତ ନୁହେଁ, ସେ ଆମ୍ଭମାନଙ୍କ କଥା ଶୁଣେ ନାହିଁ। ଏତଦ୍ଵାରା ଆମ୍ଭେମାନେ ସତ୍ୟମୟ ଆତ୍ମା ଓ ଭ୍ରାନ୍ତିପୂର୍ଣ୍ଣ ଆତ୍ମାକୁ ଚିହ୍ନି ପାରୁ।

ସନ୍ଧ୍ୟା ପ୍ରାର୍ଥନା: ପାଠ

ପ୍ର. ଯୋହ 4:11–16

11ହେ ପ୍ରିୟମାନେ, ଈଶ୍ବର ଯଦି ଆମ୍ଭମାନଙ୍କୁ ଏପରି ପ୍ରେମ କଲେ, ତେବେ ଆମ୍ଭମାନଙ୍କର ମଧ୍ୟ ପରସ୍ପରକୁ ପ୍ରେମ କରିବା ଉଚିତ୍। 12କେହି କେବେ ଈଶ୍ବରଙ୍କୁ ଦେଖି ନାହିଁ; ଆମ୍ଭେମାନେ ଯଦି ପରସ୍ପରକୁ ପ୍ରେମ କରୁ, ତାହାହେଲେ ଈଶ୍ବର ଆମ୍ଭମାନଙ୍କଠାରେ ଅଛନ୍ତି ଓ ତାହାଙ୍କ ପ୍ରେମ ଆମ୍ଭମାନଙ୍କଠାରେ ସିଦ୍ଧ ହୋଇଅଛି। 13ଆମ୍ଭେମାନେ ଯେ ତାହାଙ୍କଠାରେ ଅଛୁ ଓ ସେ ଆମ୍ଭମାନଙ୍କଠାରେ ଅଛନ୍ତି, ଏହା ଆମ୍ଭେମାନେ ଜାଣୁ, କାରଣ ସେ ଆମ୍ଭମାନଙ୍କୁ ଆପଣା ଆତ୍ମାଙ୍କର ସହଭାଗିତା ଦାନ କରିଅଛନ୍ତି। 14ପିତା ଯେ ପୁତ୍ରଙ୍କୁ ଜଗତର ତ୍ରାଣକର୍ତ୍ତା ହେବା ନିମନ୍ତେ ପ୍ରେରଣ କରିଅଛନ୍ତି, ଏହା ଆମ୍ଭେମାନେ ଦେଖିଅଛୁ ଓ ସାକ୍ଷ୍ୟ ଦେଉଅଛୁ। 15ଯେ କେହି ଯୀଶୁଙ୍କୁ ଈଶ୍ବରଙ୍କ ପୁତ୍ର ବୋଲି ସ୍ୱୀକାର କରେ, ଈଶ୍ବର ତାହାଠାରେ ଅଛନ୍ତି ଓ ସେ ଈଶ୍ବରଙ୍କଠାରେ ଅଛି। 16ପୁଣି, ଆମ୍ଭମାନଙ୍କ ପ୍ରତି ଈଶ୍ବରଙ୍କର ଯେଉଁ ପ୍ରେମ ଅଛି, ତାହା ଆମ୍ଭେମାନେ ଜାଣିଅଛୁ ଓ ବିଶ୍ୱାସ କରିଅଛୁ। ଈଶ୍ବର ତ ପ୍ରେମ; ଯେ ପ୍ରେମରେ ରହେ, ସେ ଈଶ୍ବରଙ୍କଠାରେ ରହେ ଓ ଈଶ୍ବର ତାହାଠାରେ ରହନ୍ତି।

ସନ୍ଧ୍ୟା ପ୍ରାର୍ଥନା: ପାଠ

ପ୍ର. ଯୋହ 4:20–5:5

20ଈଶ୍ବରଙ୍କୁ ପ୍ରେମ କରୁଅଛି ବୋଲି କହି ଯଦି କେହି ଆପଣା ଭାଇକୁ ଘୃଣା କରେ, ତାହାହେଲେ ସେ ମିଥ୍ୟାବାଦୀ, ଯେଣୁ ଯେଉଁ ଭାଇକୁ ଦେଖିଅଛି, ଯଦି ତାହାକୁ କେହି ପ୍ରେମ ନ କରେ, ତାହାହେଲେ ଯେଉଁ ଈଶ୍ବରଙ୍କୁ ସେ ଦେଖି ନାହିଁ, ତାହାଙ୍କୁ ପ୍ରେମ କରିପାରେ ନାହିଁ। 21ଯେ ଈଶ୍ବରଙ୍କୁ ପ୍ରେମ କରେ, ସେ ଆପଣା ଭାଇକୁ ମଧ୍ୟ ପ୍ରେମ କରୁ, ଏହି ଆଜ୍ଞା ଆମ୍ଭେମାନେ ତାହାଙ୍କଠାରୁ ପାଇଅଛୁ। 5:1ଯେ କେହି ଯୀଶୁଙ୍କୁ ଖ୍ରୀଷ୍ଟ ବୋଲି ବିଶ୍ୱାସ କରେ, ସେ ଈଶ୍ବରଙ୍କଠାରୁ ଜାତ; ଆଉ, ଯେ କେହି ଜନ୍ମଦାତାଙ୍କୁ ପ୍ରେମ କରେ, ସେ ତାହାଙ୍କଠାରୁ ଜାତ ହୋଇଥିବା ସନ୍ତାନମାନଙ୍କୁ ମଧ୍ୟ ପ୍ରେମ କରେ। 2ଆମ୍ଭେମାନେ ଯେତେବେଳେ ଈଶ୍ବରଙ୍କୁ ପ୍ରେମ କରୁ ଓ ତାହାଙ୍କ ଆଜ୍ଞା ପାଳନ କରୁ, ସେତେବେଳେ ତଦ୍ୱାରା ଜାଣି ପାରୁ ଯେ, ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନମାନଙ୍କୁ ପ୍ରେମ କରୁଅଛୁ। 3କାରଣ ଈଶ୍ବରଙ୍କୁ ପ୍ରେମ କରିବାର ଅର୍ଥ, ତାହାଙ୍କ ଆଜ୍ଞା ପାଳନ କରିବା, ଆଉ ତାହାଙ୍କ ଆଜ୍ଞାସବୁ ଭାର ସ୍ୱରୂପ ନୁହେଁ। 4ଯେ କେହି ଈଶ୍ବରଙ୍କଠାରୁ ଜାତ, ସେ ଜଗତକୁ ଜୟ କରେ, ଆଉ ଯାହା ଜଗତକୁ ଜୟ କରିଅଛି, ତାହା ଆମ୍ଭମାନଙ୍କର ବିଶ୍ୱାସ। 5ଯୀଶୁ ଈଶ୍ବରଙ୍କ ପୁତ୍ର, ଏହା ଯେ ବିଶ୍ୱାସ କରେ, ତାହା ଛଡ଼ା ଆଉ କିଏ ଜଗତକୁ ଜୟ କରେ?

ପ୍ରଭାତୀ ପ୍ରାର୍ଥନା: ସୁସମାଚାର

ଯୋହ 21:15–25

15ସେମାନେ ଭୋଜନ କଲା ଉତ୍ତାରେ ଯୀଶୁ ଶିମୋନ ପିତରଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ଏମାନଙ୍କଠାରୁ ଅଧିକ ପ୍ରେମ କରୁଅଛ?” ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ସେ ତାହାଙ୍କୁ କହିଲେ, “ମୋହର ମେଷଶାବକମାନଙ୍କୁ ଚରାଅ।” 16ସେ ପୁନର୍ବାର ଦ୍ୱିତୀୟ ଥର ତାହାଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ପ୍ରେମ କରୁଅଛ?” ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ସେ ତାହାଙ୍କୁ କହିଲେ, “ମୋହର ମେଷମାନଙ୍କୁ ପ୍ରତିପାଳନ କର।” 17ସେ ତୃତୀୟ ଥର ତାହାଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ? ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ,” ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ଯୀଶୁ ତାହାଙ୍କୁ କହିଲେ, “ମୋହର ମେଷମାନଙ୍କୁ ଚରାଅ। 18ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଯୁବକ ଥିବା ସମୟରେ ତୁମ୍ଭେ ଆପଣା କଟି ବନ୍ଧନ କରି ଯେଉଁ ଆଡ଼େ ଇଚ୍ଛା, ସେହି ଆଡ଼େ ଭ୍ରମଣ କରୁଥିଲ, କିନ୍ତୁ ବୃଦ୍ଧ ହେଲେ ତୁମ୍ଭେ ଆପଣା ହସ୍ତ ବିସ୍ତାର କରିବ ଓ ଅନ୍ୟ ଜଣେ ତୁମ୍ଭର କଟି ବନ୍ଧନ କରି, ଯେଉଁ ଆଡ଼େ ତୁମ୍ଭର ଇଚ୍ଛା ନ ଥିବ, ସେଆଡ଼େ ତୁମ୍ଭକୁ ଘେନିଯିବ।” 19ସେ କେଉଁ ପ୍ରକାର ମୃତ୍ୟୁଭୋଗ ଦ୍ୱାରା ଈଶ୍ବରଙ୍କୁ ଗୌରବାନ୍ୱିତ କରିବେ, ସେଥିର ସୂଚନା ଦେଇ ସେ ଏହା କହିଲେ। ଏହା କହିଲା ଉତ୍ତାରେ ସେ ତାହାଙ୍କୁ କହିଲେ, “ମୋହର ଅନୁଗାମୀ ହୁଅ।” 20ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ ଓ ଯେ ମଧ୍ୟ ରାତ୍ରିଭୋଜ ସମୟରେ ତାହାଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି, ପ୍ରଭୁ, ଆପଣଙ୍କୁ କିଏ ଶତ୍ରୁ ହସ୍ତରେ ସମର୍ପଣ କରିବ ବୋଲି ପଚାରିଥିଲେ, ସେହି ଶିଷ୍ୟଙ୍କୁ ପିତର ବୁଲିପଡ଼ି ପଛରେ ଆସୁଥିବା ଦେଖିଲେ। 21ପିତର ତାହାଙ୍କୁ ଦେଖି ଯୀଶୁଙ୍କୁ ପଚାରିଲେ, ପ୍ରଭୁ, ଏହାର ବିଷୟରେ କଅଣ? 22ଯୀଶୁ ତାହାଙ୍କୁ କହିଲେ, “ମୋହର ଆଗମନ ପର୍ଯ୍ୟନ୍ତ ସେ ରହୁ ବୋଲି ଯଦି ମୁଁ ଇଚ୍ଛା କରେ, ତାହାହେଲେ ସେଥିରେ ତୁମ୍ଭର କଅଣ ଅଛି? ତୁମ୍ଭେ ମୋହର ଅନୁଗାମୀ ହୁଅ।” 23ସେଥିରେ ସେହି ଶିଷ୍ୟ ଯେ ମରିବ ନାହିଁ, ଭାଇମାନଙ୍କ ମଧ୍ୟରେ ଏହି କଥା ବ୍ୟାପିଗଲା, ମାତ୍ର ସେ ମରିବ ନାହିଁ ବୋଲି ଯୀଶୁ ତାହାଙ୍କୁ କହି ନ ଥିଲେ, “କିନ୍ତୁ ମୋହର ଆଗମନ ପର୍ଯ୍ୟନ୍ତ ସେ ରହୁ ବୋଲି ଯଦି ମୁଁ ଇଚ୍ଛା କରେ, ତାହାହେଲେ ସେଥିରେ ତୁମ୍ଭର କଅଣ ଅଛି” ବୋଲି କହିଥିଲେ। 24ଯେ ଏହି ସମସ୍ତ ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି ଓ ଏହି ସମସ୍ତ ଲେଖିଅଛନ୍ତି, ସେ ସେହି ଶିଷ୍ୟ; ଆଉ, ତାହାଙ୍କ ସାକ୍ଷ୍ୟ ଯେ ସତ୍ୟ, ତାହା ଆମ୍ଭେମାନେ ଜାଣୁ। 25ପୁଣି, ଯୀଶୁ ଆହୁରି ଅନେକ ଅନେକ କର୍ମ ମଧ୍ୟ କରିଥିଲେ; ସେହିସବୁ ଯଦି ଗୋଟି ଗୋଟି କରି ଲେଖା ଯାଆନ୍ତା, ତାହାହେଲେ ଏତେ ପୁସ୍ତକ ଲେଖା ହୁଅନ୍ତା ଯେ, ମୋହର ବିଚାରରେ ସମୁଦାୟ ଜଗତରେ ସୁଦ୍ଧା ସେହିସବୁ ରଖିବା ନିମନ୍ତେ ସ୍ଥାନ ହୁଅନ୍ତା ନାହିଁ।

ପତ୍ର

ପ୍ରେରି 8:40–9:19

40କିନ୍ତୁ ଫିଲିପ୍ପ ଅଷ୍‌ଦୋଦ୍ ନାମକ ନଗରରେ ଦେଖାଗଲେ, ଆଉ ସେ ଯାଉ ଯାଉ ନଗରେ ନଗରେ ସୁସମାଚାର ପ୍ରଚାର କରି କାଇସରିୟାରେ ଯାଇ ପହଞ୍ଚିଲେ। 9:1କିନ୍ତୁ ଶାଉଲ ଏପର୍ଯ୍ୟନ୍ତ ସୁଦ୍ଧା ପ୍ରଭୁଙ୍କ ଶିଷ୍ୟମାନଙ୍କ ବିରୁଦ୍ଧରେ ଭୟ ଓ ପ୍ରାଣନାଶର କଥା କହି ମହାଯାଜକଙ୍କ ନିକଟକୁ ଗଲେ, 2ପୁଣି, ଏହି ମାର୍ଗର ଯେକୌଣସି ପୁରୁଷ କି ସ୍ତ୍ରୀର ଦେଖା ପାଆନ୍ତି, ସେମାନଙ୍କୁ ଯେପରି ବାନ୍ଧି ଯିରୂଶାଲମ ସହରକୁ ଆଣି ପାରନ୍ତି, ଏଥିସକାଶେ ଦମ୍ମେଶକର ସମସ୍ତ ସମାଜଗୃହ ନିକଟକୁ ତାହାଙ୍କଠାରୁ ପତ୍ର ମାଗିଲେ। 3ପରେ ସେ ଯାଉ ଯାଉ ଦମ୍ମେଶକର ନିକଟବର୍ତ୍ତୀ ହୁଅନ୍ତେ ଅକସ୍ମାତ୍‍ ଆକାଶରୁ ଆଲୋକ ତାହାଙ୍କ ଚାରିଆଡ଼େ ଚମକି ଉଠିଲା। 4ସେଥିରେ ସେ ଭୂମିରେ ପଡ଼ିଯାଇ ତାହାଙ୍କ ପ୍ରତି ଉକ୍ତ ଏହି ବାଣୀ ଶୁଣିଲେ, “ହେ ଶାଉଲ, ହେ ଶାଉଲ କାହିଁକି ଆମ୍ଭକୁ ତାଡ଼ନା କରୁଅଛ?” 5ସେ କହିଲେ, ହେ ପ୍ରଭୁ, ଆପଣ କିଏ? ଆଉ ସେ କହିଲେ, “ଯାହାଙ୍କୁ ତୁମ୍ଭେ ତାଡ଼ନା କରୁଅଛ, ଆମ୍ଭେ ସେହି ଯୀଶୁ।” 6“କିନ୍ତୁ ଉଠ, ନଗରରେ ପ୍ରବେଶ କର, ଆଉ ତୁମ୍ଭକୁ କଅଣ କରିବାକୁ ହେବ, ତାହା କୁହାଯିବ।” 7ଯେଉଁ ଲୋକମାନେ ତାହାଙ୍କ ସାଙ୍ଗରେ ଯାତ୍ରା କରୁଥିଲେ, ସେମାନେ ସେହି ଶବ୍ଦ ଶୁଣି କାହାରିକୁ ନ ଦେଖିବାରୁ ଅବାକ୍ ହୋଇ ରହିଲେ। 8ପୁଣି, ଶାଉଲ ଭୂମିରୁ ଉଠି ଯେତେବେଳେ ଆପଣା ଆଖି ଫିଟାଇଲେ, ସେତେବେଳେ ସେ କିଛି ଦେଖି ପାରିଲେ ନାହିଁ। ଏଣୁ ସେମାନେ ତାହାଙ୍କ ହାତ ଧରି ତାହାଙ୍କୁ ଦମ୍ମେଶକ ସହରକୁ ଘେନିଗଲେ। 9ଆଉ, ସେ ତିନି ଦିନ ପର୍ଯ୍ୟନ୍ତ ଦୃଷ୍ଟିହୀନ ହୋଇ ରହିଲେ, ପୁଣି, କିଛି ଖାଇଲେ ନାହିଁ କି ପିଇଲେ ନାହିଁ। 10ଦମ୍ମେଶକରେ ହନନୀୟ ନାମକ ଜଣେ ଶିଷ୍ୟ ଥିଲେ; ପ୍ରଭୁ ତାହାଙ୍କୁ ଦର୍ଶନ ଦେଇ କହିଲେ, “ହନନୀୟ।” ସେ କହିଲେ, ହେ ପ୍ରଭୁ, ଆଜ୍ଞା କରିବା ହେଉନ୍ତୁ। 11ସେଥିରେ ପ୍ରଭୁ ତାହାଙ୍କୁ କହିଲେ, “ଉଠ, ସଳଖ ନାମକ ପଥକୁ ଯାଇ ଯିହୂଦାର ଗୃହରେ ତାର୍ଷ ସହରର ଶାଉଲ ନାମକ ଜଣେ ବ୍ୟକ୍ତିର ଅନୁସନ୍ଧାନ କର; କାରଣ ଦେଖ, ସେ ପ୍ରାର୍ଥନା କରୁଅଛି; 12ଆଉ, ସେ ଯେପରି ଦୃଷ୍ଟିପ୍ରାପ୍ତ ହୁଏ, ଏଥିନିମନ୍ତେ ହନନୀୟ ନାମକ ଜଣେ ଲୋକ ଆସି ତାହା ଉପରେ ହସ୍ତାର୍ପଣ କରୁଅଛି ବୋଲି ସେ ଦର୍ଶନ ପାଇଅଛି।” 13କିନ୍ତୁ ହନନୀୟ ଉତ୍ତର ଦେଲେ, ପ୍ରଭୁ, ଯିରୂଶାଲମ ସହରରେ ଆପଣଙ୍କ ସାଧୁମାନଙ୍କ ପ୍ରତି ଏହି ଲୋକ ଯେ କେତେ ଅତ୍ୟାଚାର କରିଅଛି, ତାହା ମୁଁ ଅନେକଙ୍କଠାରୁ ଏହି ଲୋକ ବିଷୟରେ ଶୁଣିଅଛି। 14ଆଉ, ଏହି ସ୍ଥାନରେ ଯେତେ ଲୋକ ଆପଣଙ୍କ ନାମରେ ପ୍ରାର୍ଥନା କରନ୍ତି, ସେମାନଙ୍କୁ ବାନ୍ଧିବା ନିମନ୍ତେ ସେ ପ୍ରଧାନ ଯାଜକମାନଙ୍କ ପାଖରୁ କ୍ଷମତା ପାଇଅଛି। 15କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, “ଯାଅ; କାରଣ ସେ ଅଣଯିହୁଦୀ, ରାଜା ଓ ଇସ୍ରାଏଲର ସନ୍ତାନମାନଙ୍କ ସମ୍ମୁଖରେ ଆମ୍ଭର ନାମ ବହନ କରିବା ନିମନ୍ତେ ଆମ୍ଭର ଜଣେ ମନୋନୀତ ପାତ୍ର ଅଟେ; 16ଯେଣୁ ଆମ୍ଭର ନାମ ସକାଶେ ତାହାକୁ ଯେ କେତେ ଦୁଃଖଭୋଗ କରିବାକୁ ହେବ, ତାହା ଆମ୍ଭେ ତାହାକୁ ଜଣାଇବା।” 17ସେଥିରେ ହନନୀୟ ପ୍ରସ୍ଥାନ କରି ସେହି ଗୃହରେ ପ୍ରବେଶ କଲେ, ପୁଣି, ତାହାଙ୍କ ଉପରେ ହସ୍ତାର୍ପଣ କରି କହିଲେ, ଶାଉଲ ଭାଇ, ପ୍ରଭୁ, ଅର୍ଥାତ୍‍, ଯେଉଁ ଯୀଶୁ ତୁମ୍ଭର ଆସୁଥିବା ପଥରେ ତୁମ୍ଭକୁ ଦର୍ଶନ ଦେଲେ, ତୁମ୍ଭେ ଯେପରି ଦୃଷ୍ଟିପ୍ରାପ୍ତ ହୁଅ ଓ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହୁଅ, ଏଥିନିମନ୍ତେ ସେ ମୋତେ ପ୍ରେରଣ କରିଅଛନ୍ତି। 18ସେହିକ୍ଷଣି ତାହାଙ୍କ ଆଖିରୁ କାତି ପରି କଅଣ ଖସିପଡ଼ିଲା ଓ ସେ ଦୃଷ୍ଟି ପାଇଲେ; ପୁଣି, ସେ ଉଠି ବାପ୍ତିଜିତ ହେଲେ, 19ଆଉ ସେ ଭୋଜନ କରି ବଳ ପାଇଲେ। ଏଥିଉତ୍ତାରେ ସେ ଦମ୍ମେଶକରେ ଥିବା ଶିଷ୍ୟମାନଙ୍କ ସହିତ କେତେକ ଦିନ ରହିଲେ;

ପତ୍ର (ସନ୍ଥ ଯୋହନଙ୍କ ପାଇଁ)

ପ୍ର. ଯୋହ 1:1–7

1ଆଦ୍ୟରୁ ଯେ ଥିଲେ, ଯାହାଙ୍କ ବାକ୍ୟ ଆମ୍ଭେମାନେ ଶୁଣିଅଛୁ, ଯାହାଙ୍କୁ ସ୍ୱଚକ୍ଷୁରେ ଦେଖିଅଛୁ, ଯାହାଙ୍କୁ ନିରୀକ୍ଷଣ କରିଅଛୁ ଓ ସ୍ୱହସ୍ତରେ ସ୍ପର୍ଶ କରିଅଛୁ, ସେହି ଜୀବନ ସ୍ୱରୂପ ବାକ୍ୟ ସମ୍ବନ୍ଧରେ ଜଣାଉଅଛୁ। 2ସେହି ଜୀବନ ପ୍ରକାଶିତ ହେଲେ, ଆଉ ଆମ୍ଭେମାନେ ଦେଖିଅଛୁ ଓ ସାକ୍ଷ୍ୟ ଦେଉଅଛୁ; ଯେଉଁ ଅନନ୍ତ ଜୀବନ ପିତାଙ୍କ ସଙ୍ଗରେ ଥିଲେ ଓ ଆମ୍ଭମାନଙ୍କ ନିକଟରେ ପ୍ରକାଶିତ ହେଲେ, ତାହାଙ୍କ ବିଷୟରେ ତୁମ୍ଭମାନଙ୍କୁ ଜଣାଉଅଛୁ। 3ଯାହା ଆମ୍ଭେମାନେ ଦେଖିଅଛୁ ଓ ଶୁଣିଅଛୁ, ତାହା ତୁମ୍ଭମାନଙ୍କୁ ମଧ୍ୟ ଜଣାଉଅଛୁ, ଯେପରି ତୁମ୍ଭମାନଙ୍କର ମଧ୍ୟ ଆମ୍ଭମାନଙ୍କ ସହିତ ସହଭାଗିତା ହୋଇପାରେ; ଆଉ ଆମ୍ଭମାନଙ୍କର ସହଭାଗିତା ପିତା ଓ ତାହାଙ୍କର ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସହିତ ଅଛି। 4ଆମ୍ଭମାନଙ୍କର ଆନନ୍ଦ ଯେପରି ପରିପୂର୍ଣ୍ଣ ହୁଏ, ଏଥିନିମନ୍ତେ ଆମ୍ଭେମାନେ ଏହିସବୁ ଲେଖୁଅଛୁ। 5ଆମ୍ଭେମାନେ ତାହାଙ୍କଠାରୁ ଯେଉଁ ସମ୍ବାଦ ଶୁଣିଅଛୁ ଓ ତୁମ୍ଭମାନଙ୍କୁ ଜଣାଉଅଛୁ, ତାହା ଏହି, ଈଶ୍ବର ଜ୍ୟୋତିଃସ୍ୱରୂପ, ଆଉ ତାହାଙ୍କଠାରେ ଅନ୍ଧକାରର ଲେଶ ନାହିଁ। 6ତାହାଙ୍କ ସହିତ ଆମ୍ଭମାନଙ୍କର ସହଭାଗିତା ଅଛି, ଏହା କହି ଯଦି ଆମ୍ଭେମାନେ ଅନ୍ଧକାରରେ ଆଚରଣ କରୁ ତାହାହେଲେ ଆମ୍ଭେମାନେ ମିଥ୍ୟାବାଦୀ, ଆଉ ସତ୍ୟ ଆଚରଣ କରୁ ନ ଥାଉ। 7କିନ୍ତୁ ସେ ଯେପରି ଜ୍ୟୋତିର୍ନିବାସୀ, ଆମ୍ଭେମାନେ ଯଦି ସେହିପରି ଜ୍ୟୋତିଃରେ ଆଚରଣ କରୁ, ତେବେ ଆମ୍ଭମାନଙ୍କର ପରସ୍ପର ସହଭାଗିତା ଅଛି, ପୁଣି, ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ସମସ୍ତ ପାପରୁ ଆମ୍ଭମାନଙ୍କୁ ପରିଷ୍କାର କରେ।

ସୁସମାଚାର

ଯୋହ 6:48–54

48ମୁଁ ଜୀବନଦାୟକ ଆହାର। 49ତୁମ୍ଭମାନଙ୍କର ପିତୃ-ପୁରୁଷ ପ୍ରାନ୍ତରରେ ମାନ୍ନା ଭୋଜନ କରି ମୃତ୍ୟୁଭୋଗ କଲେ। 50କେହି ଯେପରି ଭୋଜନ କରି ମୃତ୍ୟୁଭୋଗ ନ କରେ, ଏଥିନିମନ୍ତେ ସ୍ୱର୍ଗରୁ ଅବତରଣ କରିବା ଆହାର ଏହି ଅଟେ। 51ମୁଁ ସ୍ୱର୍ଗରୁ ଅବତୀର୍ଣ୍ଣ ସେହି ଜୀବନ୍ତ ଆହାର; କେହି ଯଦି ଏହି ଆହାର ଭୋଜନ କରେ, ସେ ଅନନ୍ତକାଳ ପର୍ଯ୍ୟନ୍ତ ଜୀବିତ ରହିବ; ହଁ, ମୁଁ ଯେଉଁ ଆହାର ଦେବି, ତାହା ମୋହର ମାଂସ, ମୁଁ ତାହା ଜଗତର ଜୀବନ ନିମନ୍ତେ ଦେବି।” 52ଏଥିରେ ଯିହୁଦୀମାନେ ପରସ୍ପର ବାଗ୍‍ଯୁଦ୍ଧ କରି କହିବାକୁ ଲାଗିଲେ, ଏ କିପରି ଆମ୍ଭମାନଙ୍କୁ ଆପଣା ମାଂସ ଖାଇବାକୁ ଦେଇ ପାରେ? 53ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମନୁଷ୍ୟପୁତ୍ରଙ୍କର ମାଂସ ଭୋଜନ ନ କଲେ ଓ ତାହାଙ୍କ ରକ୍ତ ପାନ ନ କଲେ, ତୁମ୍ଭମାନଙ୍କଠାରେ ଜୀବନ ନାହିଁ। 54ଯେ ମୋହର ମାଂସ ଭୋଜନ କରେ ଓ ମୋହର ରକ୍ତ ପାନ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୁଏ, ଆଉ ମୁଁ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି।

ସୁସମାଚାର (ସନ୍ଥ ଯୋହନଙ୍କ ପାଇଁ)

ଯୋହ 19:25–27; 21:24–25

25କିନ୍ତୁ ଯୀଶୁଙ୍କ କ୍ରୁଶ ନିକଟରେ ତାହାଙ୍କ ମାତା, ତାହାଙ୍କ ମାତାଙ୍କ ଭଉଣୀ, କ୍ଳୋପାଙ୍କ ସ୍ତ୍ରୀ ମରୀୟମ ଓ ମଗ୍‌ଦଲୀନୀ ମରୀୟମ ଠିଆ ହୋଇଥିଲେ। 26ଯୀଶୁ ଆପଣା ମାତା ଓ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ, ତାହାଙ୍କୁ ପାଖରେ ଠିଆ ହୋଇଥିବା ଦେଖି ମାତାଙ୍କୁ କହିଲେ, “ଗୋ ନାରୀ, ଦେଖ, ତୁମ୍ଭର ପୁତ୍ର!” 27ତତ୍ପରେ ସେ ସେହି ଶିଷ୍ୟଙ୍କୁ କହିଲେ, “ଦେଖ, ତୁମ୍ଭର ମାତା!” ଆଉ, ସେହି ଦଣ୍ଡରୁ ସେହି ଶିଷ୍ୟ ତାହାଙ୍କୁ ଆପଣା ଗୃହକୁ ଘେନିଗଲେ। 21:24ଯେ ଏହି ସମସ୍ତ ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି ଓ ଏହି ସମସ୍ତ ଲେଖିଅଛନ୍ତି, ସେ ସେହି ଶିଷ୍ୟ; ଆଉ, ତାହାଙ୍କ ସାକ୍ଷ୍ୟ ଯେ ସତ୍ୟ, ତାହା ଆମ୍ଭେମାନେ ଜାଣୁ। 25ପୁଣି, ଯୀଶୁ ଆହୁରି ଅନେକ ଅନେକ କର୍ମ ମଧ୍ୟ କରିଥିଲେ; ସେହିସବୁ ଯଦି ଗୋଟି ଗୋଟି କରି ଲେଖା ଯାଆନ୍ତା, ତାହାହେଲେ ଏତେ ପୁସ୍ତକ ଲେଖା ହୁଅନ୍ତା ଯେ, ମୋହର ବିଚାରରେ ସମୁଦାୟ ଜଗତରେ ସୁଦ୍ଧା ସେହିସବୁ ରଖିବା ନିମନ୍ତେ ସ୍ଥାନ ହୁଅନ୍ତା ନାହିଁ।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ମଇ 8 ନାଗରିକ ପଞ୍ଜିକାର ମଇ 21। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର