ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମଇ 2027 › ମଇ 23
ଅର୍ଥୋଡକ୍ସ ପଞ୍ଜିକା · 10 ମଇ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 23 ମଇ 2027
ରବିବାର · ସ୍ୱର 3
ପର୍ବ ଓ ସନ୍ଥ
ପାସ୍କାର ଚତୁର୍ଥ ରବିବାର
ପକ୍ଷାଘାତ ରୋଗୀର ରବିବାର
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ସନ୍ଧ୍ୟା ପ୍ରାର୍ଥନା: ପାଠ
21ହେ ପ୍ରିୟମାନେ, ଆମ୍ଭମାନଙ୍କ ହୃଦୟ ଯଦି ଆମ୍ଭମାନଙ୍କୁ ଦୋଷୀ ନ କରେ, ତାହାହେଲେ ଈଶ୍ବରଙ୍କ ଛାମୁରେ ଆମ୍ଭମାନଙ୍କର ସାହସ ଅଛି, 22ପୁଣି, ଆମ୍ଭେମାନେ ଯାହା ଯାହା ମାଗୁ, ସେହିସବୁ ତାହାଙ୍କଠାରୁ ପାଇଥାଉ, କାରଣ ଆମ୍ଭେମାନେ ତାହାଙ୍କର ଆଜ୍ଞା ପାଳନ କରୁ, ପୁଣି, ତାହାଙ୍କର ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା କରିଥାଉ। 23ତାହାଙ୍କର ଆଜ୍ଞା ଏହି ଯେ, ଆମ୍ଭେମାନେ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବିଶ୍ୱାସ କରିବା ଓ ତାହାଙ୍କ ଦତ୍ତ ଆଜ୍ଞାନୁସାରେ ପରସ୍ପରକୁ ପ୍ରେମ କରିବା। 24ଯେ ତାହାଙ୍କ ଆଜ୍ଞା ପାଳନ କରେ, ସେ ତାହାଙ୍କଠାରେ ରହେ ଓ ସେ ତାହାଠାରେ ରହନ୍ତି; ଆଉ ସେ ଯେ ଆମ୍ଭମାନଙ୍କଠାରେ ରହନ୍ତି, ଏହା ଆମ୍ଭେମାନେ ତାହାଙ୍କ ଦତ୍ତ ପବିତ୍ର ଆତ୍ମାଙ୍କ ଦ୍ୱାରା ଜାଣୁଅଛୁ। 4:1ହେ ପ୍ରିୟମାନେ, ପ୍ରତ୍ୟେକ ଆତ୍ମାଙ୍କୁ ବିଶ୍ୱାସ କର ନାହିଁ, ବରଂ ଆତ୍ମାମାନେ ଈଶ୍ବରଙ୍କଠାରୁ ଆଗତ କି ନାହିଁ, ଏହା ସେମାନଙ୍କୁ ପରୀକ୍ଷା କରି ଦେଖ, କାରଣ ଜଗତରେ ଅନେକ ଭଣ୍ଡ ଭାବବାଦୀ ବାହାରି ଅଛନ୍ତି। 2ଏହା ଦ୍ୱାରା ତୁମ୍ଭେମାନେ ଈଶ୍ବରଙ୍କ ଆତ୍ମାଙ୍କୁ ଚିହ୍ନି ପାରିବ, ଯୀଶୁ ଖ୍ରୀଷ୍ଟ ଯେ ଦେହବନ୍ତ ହୋଇ ଆସିଅଛନ୍ତି, ଏହା ଯେକୌଣସି ଆତ୍ମା ସ୍ୱୀକାର କରେ, ସେ ଈଶ୍ବରଙ୍କଠାରୁ ଆଗତ, 3ଆଉ ଯେକୌଣସି ଆତ୍ମା ଯୀଶୁଙ୍କୁ ସ୍ୱୀକାର ନ କରେ, ସେ ଈଶ୍ବରଙ୍କଠାରୁ ଆଗତ ନୁହେଁ; ଏହା ଭଣ୍ଡଖ୍ରୀଷ୍ଟର ଆତ୍ମା, ଯାହାର ଆଗମନ କଥା ତୁମ୍ଭେମାନେ ଶୁଣିଅଛ, ପୁଣି, ତାହା ଏବେ ହେଁ ଜଗତରେ ଉପସ୍ଥିତ ହୋଇଅଛି। 4ହେ ବତ୍ସଗଣ, ତୁମ୍ଭେମାନେ ଈଶ୍ବରଙ୍କଠାରୁ ଜାତ, ଆଉ ତୁମ୍ଭେମାନେ ସେମାନଙ୍କୁ ଜୟ କରିଅଛ, କାରଣ ତୁମ୍ଭମାନଙ୍କଠାରେ ଯେ ଅଛନ୍ତି, ସେ, ଜଗତରେ ଯେ ଅଛି, ତାହାଠାରୁ ମହାନ। 5ସେମାନେ ଜଗତରୁ ଉତ୍ପନ୍ନ, ଅତଏବ ସେମାନେ ଜାଗତିକ କଥା କହନ୍ତି, ଆଉ ଜଗତ ସେମାନଙ୍କ କଥା ଶୁଣେ। 6କିନ୍ତୁ ଆମ୍ଭେମାନେ ଈଶ୍ବରଙ୍କଠାରୁ ଜାତ; ଯେ ଈଶ୍ବରଙ୍କୁ ଜାଣେ, ସେ ଆମ୍ଭମାନଙ୍କ କଥା ଶୁଣେ; ଯେ ଈଶ୍ବରଙ୍କଠାରୁ ଜାତ ନୁହେଁ, ସେ ଆମ୍ଭମାନଙ୍କ କଥା ଶୁଣେ ନାହିଁ। ଏତଦ୍ଵାରା ଆମ୍ଭେମାନେ ସତ୍ୟମୟ ଆତ୍ମା ଓ ଭ୍ରାନ୍ତିପୂର୍ଣ୍ଣ ଆତ୍ମାକୁ ଚିହ୍ନି ପାରୁ।
ସନ୍ଧ୍ୟା ପ୍ରାର୍ଥନା: ପାଠ
11ହେ ପ୍ରିୟମାନେ, ଈଶ୍ବର ଯଦି ଆମ୍ଭମାନଙ୍କୁ ଏପରି ପ୍ରେମ କଲେ, ତେବେ ଆମ୍ଭମାନଙ୍କର ମଧ୍ୟ ପରସ୍ପରକୁ ପ୍ରେମ କରିବା ଉଚିତ୍। 12କେହି କେବେ ଈଶ୍ବରଙ୍କୁ ଦେଖି ନାହିଁ; ଆମ୍ଭେମାନେ ଯଦି ପରସ୍ପରକୁ ପ୍ରେମ କରୁ, ତାହାହେଲେ ଈଶ୍ବର ଆମ୍ଭମାନଙ୍କଠାରେ ଅଛନ୍ତି ଓ ତାହାଙ୍କ ପ୍ରେମ ଆମ୍ଭମାନଙ୍କଠାରେ ସିଦ୍ଧ ହୋଇଅଛି। 13ଆମ୍ଭେମାନେ ଯେ ତାହାଙ୍କଠାରେ ଅଛୁ ଓ ସେ ଆମ୍ଭମାନଙ୍କଠାରେ ଅଛନ୍ତି, ଏହା ଆମ୍ଭେମାନେ ଜାଣୁ, କାରଣ ସେ ଆମ୍ଭମାନଙ୍କୁ ଆପଣା ଆତ୍ମାଙ୍କର ସହଭାଗିତା ଦାନ କରିଅଛନ୍ତି। 14ପିତା ଯେ ପୁତ୍ରଙ୍କୁ ଜଗତର ତ୍ରାଣକର୍ତ୍ତା ହେବା ନିମନ୍ତେ ପ୍ରେରଣ କରିଅଛନ୍ତି, ଏହା ଆମ୍ଭେମାନେ ଦେଖିଅଛୁ ଓ ସାକ୍ଷ୍ୟ ଦେଉଅଛୁ। 15ଯେ କେହି ଯୀଶୁଙ୍କୁ ଈଶ୍ବରଙ୍କ ପୁତ୍ର ବୋଲି ସ୍ୱୀକାର କରେ, ଈଶ୍ବର ତାହାଠାରେ ଅଛନ୍ତି ଓ ସେ ଈଶ୍ବରଙ୍କଠାରେ ଅଛି। 16ପୁଣି, ଆମ୍ଭମାନଙ୍କ ପ୍ରତି ଈଶ୍ବରଙ୍କର ଯେଉଁ ପ୍ରେମ ଅଛି, ତାହା ଆମ୍ଭେମାନେ ଜାଣିଅଛୁ ଓ ବିଶ୍ୱାସ କରିଅଛୁ। ଈଶ୍ବର ତ ପ୍ରେମ; ଯେ ପ୍ରେମରେ ରହେ, ସେ ଈଶ୍ବରଙ୍କଠାରେ ରହେ ଓ ଈଶ୍ବର ତାହାଠାରେ ରହନ୍ତି।
ସନ୍ଧ୍ୟା ପ୍ରାର୍ଥନା: ପାଠ
20ଈଶ୍ବରଙ୍କୁ ପ୍ରେମ କରୁଅଛି ବୋଲି କହି ଯଦି କେହି ଆପଣା ଭାଇକୁ ଘୃଣା କରେ, ତାହାହେଲେ ସେ ମିଥ୍ୟାବାଦୀ, ଯେଣୁ ଯେଉଁ ଭାଇକୁ ଦେଖିଅଛି, ଯଦି ତାହାକୁ କେହି ପ୍ରେମ ନ କରେ, ତାହାହେଲେ ଯେଉଁ ଈଶ୍ବରଙ୍କୁ ସେ ଦେଖି ନାହିଁ, ତାହାଙ୍କୁ ପ୍ରେମ କରିପାରେ ନାହିଁ। 21ଯେ ଈଶ୍ବରଙ୍କୁ ପ୍ରେମ କରେ, ସେ ଆପଣା ଭାଇକୁ ମଧ୍ୟ ପ୍ରେମ କରୁ, ଏହି ଆଜ୍ଞା ଆମ୍ଭେମାନେ ତାହାଙ୍କଠାରୁ ପାଇଅଛୁ। 5:1ଯେ କେହି ଯୀଶୁଙ୍କୁ ଖ୍ରୀଷ୍ଟ ବୋଲି ବିଶ୍ୱାସ କରେ, ସେ ଈଶ୍ବରଙ୍କଠାରୁ ଜାତ; ଆଉ, ଯେ କେହି ଜନ୍ମଦାତାଙ୍କୁ ପ୍ରେମ କରେ, ସେ ତାହାଙ୍କଠାରୁ ଜାତ ହୋଇଥିବା ସନ୍ତାନମାନଙ୍କୁ ମଧ୍ୟ ପ୍ରେମ କରେ। 2ଆମ୍ଭେମାନେ ଯେତେବେଳେ ଈଶ୍ବରଙ୍କୁ ପ୍ରେମ କରୁ ଓ ତାହାଙ୍କ ଆଜ୍ଞା ପାଳନ କରୁ, ସେତେବେଳେ ତଦ୍ୱାରା ଜାଣି ପାରୁ ଯେ, ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନମାନଙ୍କୁ ପ୍ରେମ କରୁଅଛୁ। 3କାରଣ ଈଶ୍ବରଙ୍କୁ ପ୍ରେମ କରିବାର ଅର୍ଥ, ତାହାଙ୍କ ଆଜ୍ଞା ପାଳନ କରିବା, ଆଉ ତାହାଙ୍କ ଆଜ୍ଞାସବୁ ଭାର ସ୍ୱରୂପ ନୁହେଁ। 4ଯେ କେହି ଈଶ୍ବରଙ୍କଠାରୁ ଜାତ, ସେ ଜଗତକୁ ଜୟ କରେ, ଆଉ ଯାହା ଜଗତକୁ ଜୟ କରିଅଛି, ତାହା ଆମ୍ଭମାନଙ୍କର ବିଶ୍ୱାସ। 5ଯୀଶୁ ଈଶ୍ବରଙ୍କ ପୁତ୍ର, ଏହା ଯେ ବିଶ୍ୱାସ କରେ, ତାହା ଛଡ଼ା ଆଉ କିଏ ଜଗତକୁ ଜୟ କରେ?
ପ୍ରଭାତୀ ପ୍ରାର୍ଥନାର ଚତୁର୍ଥ ସୁସମାଚାର
1ଆଉ ବିଶ୍ରାମବାର ଦିନରେ ସେମାନେ ବିଧି ଅନୁସାରେ ବିଶ୍ରାମ କଲେ, କିନ୍ତୁ ସପ୍ତାହର ପ୍ରଥମ ଦିନର ଅତି ପ୍ରତ୍ୟୁଷରେ ସେମାନେ ସେମାନଙ୍କ ପ୍ରସ୍ତୁତ ସୁଗନ୍ଧିଦ୍ରବ୍ୟ ଘେନି ସମାଧି-ସ୍ଥାନ ନିକଟକୁ ଗଲେ। 2ପୁଣି, ସେମାନେ ସମାଧିରୁ ପଥରଟା ଗଡ଼ାଇ ଦିଆଯାଇଥିବା ଦେଖିଲେ, 3କିନ୍ତୁ ଭିତରକୁ ଯାଇ ପ୍ରଭୁ ଯୀଶୁଙ୍କ ଶରୀର ପାଇଲେ ନାହିଁ। 4ଆଉ, ସେମାନେ ସେ ସମ୍ବନ୍ଧରେ ହତବୁଦ୍ଧି ହେଉଅଛନ୍ତି, ଏପରି ସମୟରେ ଦେଖ, ଉଜ୍ଜ୍ୱଳବସ୍ତ୍ର ପରିହିତ ଦୁଇ ଜଣ ବ୍ୟକ୍ତି ସେମାନଙ୍କ ନିକଟରେ ଉପସ୍ଥିତ ହେଲେ; 5ସେଥିରେ ସେମାନେ ଭୀତ ହୋଇ ଅଧୋମୁଖ ହୁଅନ୍ତେ ସେମାନେ ସେମାନଙ୍କୁ କହିଲେ, ମୃତମାନଙ୍କ ମଧ୍ୟରେ ତୁମ୍ଭେମାନେ କାହିଁକି ଜୀବିତଙ୍କର ଅନ୍ୱେଷଣ କରୁଅଛ? 6ସେ ଏଠାରେ ନାହାନ୍ତି, ମାତ୍ର ଉଠିଅଛନ୍ତି। “ମନୁଷ୍ୟପୁତ୍ରଙ୍କୁ ଯେ ଅବଶ୍ୟ ପାପୀମାନଙ୍କ ହସ୍ତରେ ସମର୍ପିତ ହୋଇ କ୍ରୁଶରେ ହତ ହେବାକୁ ଓ ତୃତୀୟ ଦିବସରେ ପୁନରୁତ୍ଥାନ କରିବାକୁ ହେବ,” 7ଏହି ଯେଉଁ ବାକ୍ୟ ସେ ଗାଲିଲୀରେ ଥିବା ସମୟରେ ତୁମ୍ଭମାନଙ୍କୁ କହିଥିଲେ, ତାହା ସ୍ମରଣ କର। 8ସେଥିରେ ସେମାନେ ତାହାଙ୍କ ବାକ୍ୟ ସ୍ମରଣ କଲେ, 9ପୁଣି, ସମାଧିରୁ ବାହୁଡ଼ିଯାଇ ଏକାଦଶ ଶିଷ୍ୟମାନଙ୍କୁ ଓ ଅନ୍ୟ ସମସ୍ତଙ୍କୁ ଏହିସବୁ ସମ୍ବାଦ ଦେଲେ। 10ଏମାନେ ମଗ୍ଦଲୀନୀ ମରୀୟମ, ଯୋହାନା, ଯାକୁବଙ୍କ ମାତା ମରୀୟମ ଓ ଏମାନଙ୍କ ସାଙ୍ଗରେ ଥିବା ଅନ୍ୟ ସ୍ତ୍ରୀଲୋକମାନେ; ଏମାନେ ପ୍ରେରିତମାନଙ୍କୁ ଏହିସବୁ ବିଷୟ ଜଣାଇଲେ। 11ମାତ୍ର ଏସମସ୍ତ କଥା ସେମାନଙ୍କ ନିକଟରେ କଳ୍ପିତ ଗଳ୍ପ ପରି ଲାଗିଲା, ଆଉ ସେମାନେ ସେମାନଙ୍କୁ ବିଶ୍ୱାସ କଲେ ନାହିଁ। 12[କିନ୍ତୁ ପିତର ଉଠି ସମାଧି ନିକଟକୁ ଦୌଡ଼ିଗଲେ ପୁଣି, ନଇଁପଡ଼ି ଚାହିଁ କେବଳ ସୂକ୍ଷ୍ମ ବସ୍ତ୍ରସବୁ ଦେଖିଲେ, ଆଉ ସେ ସେହି ଘଟଣା ବିଷୟରେ ଚମତ୍କୃତ ହୋଇ ଆପଣା ଘରକୁ ଚାଲିଗଲେ।]
ପତ୍ର
32ଇତିମଧ୍ୟରେ ପିତର ସମସ୍ତ ଅଞ୍ଚଳ ଭ୍ରମଣ କରୁ କରୁ ଲୂଦ ନଗରବାସୀ ସାଧୁମାନଙ୍କ ନିକଟକୁ ମଧ୍ୟ ଆସିଲେ। 33ସେ ସ୍ଥାନରେ ସେ ଏନୀୟ ନାମକ ଜଣେ ଲୋକଙ୍କର ଦେଖାପାଇଲେ, ସେ ଆଠ ବର୍ଷ ପର୍ଯ୍ୟନ୍ତ ଶଯ୍ୟାଶାୟୀ ଥିଲେ; ତାହାଙ୍କୁ ପକ୍ଷାଘାତ ହୋଇଥିଲା। 34ପିତର ତାହାଙ୍କୁ କହିଲେ, ଏନୀୟ, ଯୀଶୁ ଖ୍ରୀଷ୍ଟ ତୁମ୍ଭକୁ ସୁସ୍ଥ କରୁଅଛନ୍ତି; ଉଠ, ତୁମ୍ଭର ଶେଯ ସଜାଡ଼। ସେଥିରେ ସେ ସେହିକ୍ଷଣି ଉଠିଲେ। 35ଆଉ, ଲୂଦ ଓ ଶାରୋଣନିବାସୀ ସମସ୍ତେ ତାହାଙ୍କୁ ଦେଖି ପ୍ରଭୁଙ୍କ ପ୍ରତି ଫେରିଲେ। 36ଯାଫୋ ସହରରେ ଟାବୀଥା ନାମକ ଜଣେ ଶିଷ୍ୟା ଥିଲେ, ଅନୁବାଦ କଲେ ଏହି ନାମର ଅର୍ଥ ଦର୍କା। ସେ ନାନା ସତ୍କର୍ମ ଓ ଦାନ-କ୍ରିୟାରେ ପୂର୍ଣ୍ଣ ଥିଲେ। 37ସେହି ସମୟରେ ସେ ପୀଡ଼ିତା ହୋଇ ପ୍ରାଣତ୍ୟାଗ କଲେ, ସେଥିରେ ସେମାନେ ତାହାଙ୍କୁ ସ୍ନାନ କରାଇ ଗୋଟିଏ ଉପର କୋଠରୀରେ ଶୁଆଇଦେଲେ। 38ପୁଣି, ଲୂଦ ଯାଫୋ ସହରର ନିକଟବର୍ତ୍ତୀ ଥିବାରୁ ଶିଷ୍ୟମାନେ ପିତର ସେଠାରେ ଅଛନ୍ତି ବୋଲି ଶୁଣି, ଦୁଇ ଜଣ ଲୋକଙ୍କୁ ତାହାଙ୍କ ନିକଟକୁ ପଠାଇ ଏହା ନିବେଦନ କଲେ, ଆମ୍ଭମାନଙ୍କ ନିକଟକୁ ଆସିବା ପାଇଁ ବିଳମ୍ବ କରନ୍ତୁ ନାହିଁ। 39ଏଣୁ ପିତର ଉଠି ସେମାନଙ୍କ ସାଙ୍ଗରେ ଗଲେ। ସେ ଆସନ୍ତେ, ସେମାନେ ତାହାଙ୍କୁ ସେହି ଉପର କୋଠରୀକୁ ଘେନିଗଲେ, ଆଉ ବିଧବାମାନେ ସମସ୍ତେ ତାହାଙ୍କୁ ଘେରି ବିଳାପ କରୁ କରୁ, ଦର୍କା ସେମାନଙ୍କ ସାଙ୍ଗରେ ଥିବା ସମୟରେ ଯେଉଁ ସବୁ ଅଙ୍ଗରଖା ଓ ବସ୍ତ୍ରଗୁଡ଼ିକ ବୁଣିଥିଲେ, ସେହିସବୁ ଦେଖାଇବାକୁ ଲାଗିଲେ। 40କିନ୍ତୁ, ପିତର ସମସ୍ତଙ୍କୁ ବାହାର କରିଦେଇ ଆଣ୍ଠୁ ମାଡ଼ି ପ୍ରାର୍ଥନା କଲେ, ପୁଣି, ଶବ ଆଡ଼କୁ ବୁଲିପଡ଼ି କହିଲେ, ଟାବୀଥା, ଉଠ। ସେଥିରେ ସେ ଆଖି ମେଲା କଲେ, ଆଉ ପିତରକୁ ଦେଖି ଉଠି ବସିଲେ। 41ପୁଣି, ସେ ହାତ ଦେଇ ତାହାଙ୍କୁ ଉଠାଇଲେ ଏବଂ ସାଧୁମାନଙ୍କୁ ଓ ବିଧବାମାନଙ୍କୁ ଡାକି ତାହାଙ୍କୁ ଜୀବିତ ଦେଖାଇଲେ। 42ଏହି କଥା ଯାଫୋ ସହରର ସବୁଆଡ଼େ ଜଣାପଡ଼ିଲା ଓ ଅନେକେ ପ୍ରଭୁଙ୍କଠାରେ ବିଶ୍ୱାସ କଲେ।
ପତ୍ର (ସନ୍ଥ ଶିମିୟୋନଙ୍କ ପାଇଁ)
9କାରଣ ମୋହର ମନେ ହୁଏ, ଆମ୍ଭେମାନେ ଯେ ପ୍ରେରିତ, ଆମ୍ଭମାନଙ୍କୁ ଈଶ୍ବର ମୃତ୍ୟୁମୁଖରେ ସମର୍ପିତ ସର୍ବଶେଷର ଲୋକମାନଙ୍କ ସଦୃଶ ପ୍ରଦର୍ଶନ କରିଅଛନ୍ତି, ଯେଣୁ ଆମ୍ଭେମାନେ ଜଗତ, ଦୂତ ଓ ମନୁଷ୍ୟମାନଙ୍କ ନିକଟରେ କୌତୁକର ବିଷୟ ହୋଇଅଛୁ। 10ଆମ୍ଭେମାନେ ଖ୍ରୀଷ୍ଟଙ୍କ ନିମନ୍ତେ ମୂର୍ଖ, କିନ୍ତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ବୁଦ୍ଧିମାନ; ଆମ୍ଭେମାନେ ଦୁର୍ବଳ, କିନ୍ତୁ ତୁମ୍ଭେମାନେ ବଳବାନ; ତୁମ୍ଭେମାନେ ଗୌରବପ୍ରାପ୍ତ, କିନ୍ତୁ ଆମ୍ଭେମାନେ ଅନାଦୃତ। 11ଏ ସମୟ ପର୍ଯ୍ୟନ୍ତ ସୁଦ୍ଧା ଆମ୍ଭେମାନେ କ୍ଷୁଧିତ ଓ ତୃଷିତ, ବସ୍ତ୍ରହୀନ ଓ ପ୍ରହାରିତ ହେଉଅଛୁ, ପୁଣି, ନିରାଶ୍ରୟ ହୋଇ ଭ୍ରମଣ କରୁ କରୁ 12ସ୍ୱହସ୍ତରେ କର୍ମ କରି ପରିଶ୍ରମ କରୁଅଛୁ, ନିନ୍ଦିତ ହୋଇ ଆଶୀର୍ବାଦ କରୁଅଛୁ, ତାଡ଼ନା ପ୍ରାପ୍ତ ହୋଇ ସହ୍ୟ କରୁଅଛୁ, 13ଅପବାଦିତ ହୋଇ ମିଳନର କଥା କହୁଅଛୁ; ଏପର୍ଯ୍ୟନ୍ତ ସୁଦ୍ଧା ଆମ୍ଭେମାନେ ଜଗତର ଆବର୍ଜନା, ସମସ୍ତଙ୍କର କଳଙ୍କ ସ୍ୱରୂପ ହୋଇଅଛୁ। 14ମୁଁ ତୁମ୍ଭମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଏହି ସମସ୍ତ ବିଷୟ ଲେଖୁ ନାହିଁ, କିନ୍ତୁ ମୋହର ପ୍ରିୟ ସନ୍ତାନ ବୋଲି ମନେ କରି ତୁମ୍ଭମାନଙ୍କୁ ଚେତନା ଦେବା ନିମନ୍ତେ ଏହି ସମସ୍ତ ଲେଖୁଅଛି। 15କାରଣ ଯଦ୍ୟପି ଖ୍ରୀଷ୍ଟଙ୍କ ବିଷୟରେ ତୁମ୍ଭମାନଙ୍କର ଦଶ ସହସ୍ର ଶିକ୍ଷକ ଥାଆନ୍ତେ, ତଥାପି ତୁମ୍ଭମାନଙ୍କର ଅନେକ ପିତା ନାହାନ୍ତି; କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ମୁଁ ତୁମ୍ଭମାନଙ୍କୁ ସୁସମାଚାର ଦ୍ୱାରା ଜନ୍ମ ଦେଇଅଛି। 16ଏଣୁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରେ, ତୁମ୍ଭେମାନେ ମୋହର ଅନୁକାରୀ ହୁଅ।
ସୁସମାଚାର
1ଏଥିଉତ୍ତାରେ ଯିହୁଦୀମାନଙ୍କର ଗୋଟିଏ ପର୍ବ ପଡ଼ିଲା, ଆଉ ଯୀଶୁ ଯିରୂଶାଲମ ସହରକୁ ଯାତ୍ରା କଲେ। 2ଯିରୂଶାଲମ ସହରର ମେଷଦ୍ୱାର ନିକଟରେ ଗୋଟିଏ ପୋଖରୀ ଅଛି; ଏବ୍ରୀ ଭାଷାରେ ତାହାକୁ ବେଥେସ୍ଦା ବୋଲି କହନ୍ତି, ତାହାର ପାଞ୍ଚୋଟି ମଣ୍ଡପ। 3ସେଗୁଡ଼ିକରେ ଅନେକ ଅନେକ ପୀଡ଼ିତ, ଅନ୍ଧ, ଖଞ୍ଜ ଓ ଶୁଷ୍କାଙ୍ଗ ପଡ଼ିରହୁଥିଲେ। [ସେମାନେ ଜଳସଞ୍ଚଳନ ଅପେକ୍ଷାରେ ରହୁଥିଲେ; 4କାରଣ କୌଣସି କୌଣସି ସମୟରେ ପ୍ରଭୁଙ୍କର ଜଣେ ଦୂତ ପୁଷ୍କରିଣୀରେ ଅବତରଣ କରି ଜଳ କମ୍ପାଉଥିଲେ, ଆଉ ଜଳ କମ୍ପିଲା ପରେ ଯେ କେହି ପ୍ରଥମରେ ସେଥିରେ ପ୍ରବେଶ କରୁଥିଲା, ସେ ଯେକୌଣସି ରୋଗରେ ଆକ୍ରାନ୍ତ ହୋଇଥିଲେ ସୁଦ୍ଧା ସୁସ୍ଥ ହେଉଥିଲା।] 5ସେଠାରେ ଅଠତିରିଶି ବର୍ଷାବଧି ରୋଗଗ୍ରସ୍ତ ଜଣେ ଲୋକ ଥିଲା। 6ଯୀଶୁ ତାହାକୁ ପଡ଼ିରହିଥିବା ଦେଖି ବହୁକାଳର ରୋଗୀ ବୋଲି ଜାଣି ତାହାକୁ ପଚାରିଲେ, “ତୁମ୍ଭେ କଅଣ ସୁସ୍ଥ ହେବାକୁ ଇଚ୍ଛା କରୁଅଛ?” 7ରୋଗୀଟି ତାହାଙ୍କୁ ଉତ୍ତର ଦେଲା, ମହାଶୟ, ଜଳ କମ୍ପିବା ସମୟରେ ମୋତେ ପୋଖରୀ ଭିତରକୁ ଘେନିଯିବା ପାଇଁ ମୋହର କେହି ନାହିଁ; ଆଉ, ମୁଁ ଯାଉ ଯାଉ ଅନ୍ୟ ଜଣେ ମୋʼ ଆଗରୁ ପଶିଯାଏ। 8ଯୀଶୁ ତାହାଙ୍କୁ କହିଲେ, “ଉଠ, ତୁମ୍ଭର ଖଟିଆ ଘେନି ଚାଲ।” 9ସେହିକ୍ଷଣି ସେ ଲୋକଟି ସୁସ୍ଥ ହେଲା ଓ ଆପଣାର ଖଟିଆ ଘେନି ଚାଲିବାକୁ ଲାଗିଲା। ସେହି ଦିନ ବିଶ୍ରାମବାର ଥିଲା। 10ଅତଏବ, କେତେକ ଯିହୁଦୀ ନେତାମାନେ ସୁସ୍ଥ ହୋଇଥିବା ଲୋକକୁ କହିବାକୁ ଲାଗିଲେ, ଆଜି ବିଶ୍ରାମବାର, ଖଟିଆ ବୋହିନେଇଯିବା ତୁମ୍ଭ ନିମନ୍ତେ ବିଧିସଙ୍ଗତ ନୁହେଁ। 11କିନ୍ତୁ, ସେ ସେମାନଙ୍କୁ ଉତ୍ତର ଦେଲା, ଯେ ମୋତେ ସୁସ୍ଥ କଲେ, ସେ ମୋତେ କହିଲେ, “ତୁମ୍ଭର ଖଟିଆ ଘେନି ଚାଲ।” 12ସେମାନେ ତାହାକୁ ପଚାରିଲେ, ତୁମ୍ଭର ଖଟିଆ ଘେନି ଚାଲ ବୋଲି ଯେ ତୁମ୍ଭକୁ କହିଲା, ସେ ଲୋକ କିଏ? 13କିନ୍ତୁ ସେ କିଏ, ତାହା ସେହି ସୁସ୍ଥ ହୋଇଥିବା ଲୋକ ଜାଣି ନ ଥିଲା, କାରଣ ସେ ସ୍ଥାନରେ ବହୁତ ଲୋକ ଥିବାରୁ ଯୀଶୁ ଅଗୋଚରରେ ଚାଲିଯାଇଥିଲେ। 14ଏହାପରେ ଯୀଶୁ ମନ୍ଦିରରେ ତାହାର ଦେଖା ପାଇ ତାହାକୁ କହିଲେ, “ଦେଖ, ତୁମ୍ଭେ ସୁସ୍ଥ ହୋଇଅଛ, ଆଉ ପାପ କର ନାହିଁ, ଯେପରି ତୁମ୍ଭ ପ୍ରତି ଅଧିକ ଦୁର୍ଦ୍ଦଶା ନ ଘଟେ।” 15ସେହି ଲୋକ ଚାଲିଯାଇ, ଯେ ତାହାକୁ ସୁସ୍ଥ କରିଥିଲେ, ସେ ଯୀଶୁ ବୋଲି ଯିହୁଦୀମାନଙ୍କୁ କହିଲା।
ସୁସମାଚାର (ସନ୍ଥ ଶିମିୟୋନଙ୍କ ପାଇଁ)
54ଆଉ, ସେ ନିଜ ପୈତୃକ ନଗରକୁ ଆସି ଲୋକମାନଙ୍କୁ ସେମାନଙ୍କ ସମାଜଗୃହରେ ଏପରି ଶିକ୍ଷା ଦେଲେ ଯେ, ସେମାନେ ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ, ଏ ଲୋକର ଏପରି ବୁଦ୍ଧି ଓ ଶକ୍ତିର କାର୍ଯ୍ୟ କେଉଁଠାରୁ ହେଲା? 55ଏ କି ସେହି ବଢ଼େଇର ପୁଅ ନୁହେଁ? ଏହାର ମାଆ ନାମ କଅଣ ମରୀୟମ ନୁହେଁ? ପୁଣି, ଏହାର ଭାଇମାନଙ୍କ ନାମ କଅଣ ଯାକୁବ, ଯୋଷେଫ, ଶିମୋନ ଓ ଯିହୂଦା ନୁହେଁ? 56ଆଉ, ଏହାର ଭଉଣୀମାନେ କଅଣ ସମସ୍ତେ ଆମ୍ଭମାନଙ୍କ ସାଙ୍ଗରେ ନାହାନ୍ତି? ତେବେ ସେ ଏହିସବୁ କେଉଁଠୁ ପାଇଲା? 57ଆଉ, ସେମାନେ ତାହାଙ୍କଠାରେ ବିଘ୍ନ ପାଇଲେ। କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ଭାବବାଦୀ ନିଜ ପୈତୃକ ନଗର ଓ ସ୍ୱପରିବାର ବିନା ଅନ୍ୟ କୌଣସିଠାରେ ହତାଦର ହୁଅନ୍ତି ନାହିଁ।” 58ଆଉ, ସେ ସେମାନଙ୍କର ଅବିଶ୍ୱାସ ହେତୁ ସେଠାରେ ଅନେକ ମହତର କାର୍ଯ୍ୟ କଲେ ନାହିଁ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ମଇ 10 ନାଗରିକ ପଞ୍ଜିକାର ମଇ 23। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର